Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 25

ଅର୍ଥୋଡକ୍ସ ପଞ୍ଜିକା · 12 ମଇ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 25 ମଇ 2027

ମଙ୍ଗଳବାର · ପାସ୍କାର ଚତୁର୍ଥ ସପ୍ତାହ · ସ୍ୱର 3

ପର୍ବ ଓ ସନ୍ଥ

St. Epiphanius the Bishop of Cyprus († 403)

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ରେରି 10:21–33

21ସେଥିରେ ପିତର ସେହି ଲୋକମାନଙ୍କ ନିକଟକୁ ଓହ୍ଲାଇ ଆସି କହିଲେ, ଦେଖ, ତୁମ୍ଭେମାନେ ଯାହାକୁ ଖୋଜୁଅଛ, ମୁଁ ସେହି। ତୁମ୍ଭମାନଙ୍କ ଆସିବାର କାରଣ କଅଣ? 22ସେମାନେ କହିଲେ, କର୍ଣ୍ଣିଲୀୟ ନାମକ ଜଣେ ଶତ-ସେନାପତି, ଯେ ଧାର୍ମିକ ବ୍ୟକ୍ତି ଓ ଈଶ୍ବରଙ୍କୁ ଭୟ କରନ୍ତି, ପୁଣି, ସମସ୍ତ ଯିହୁଦୀ ଜାତିଙ୍କ ନିକଟରେ ସୁଖ୍ୟାତି ପ୍ରାପ୍ତ, ସେ ନିଜ ଗୃହକୁ ଆପଣଙ୍କୁ ଡକାଇପଠାଇ ଆପଣଙ୍କଠାରୁ କଥା ଶୁଣିବା ନିମନ୍ତେ ପବିତ୍ର ଦୂତଙ୍କ ଦ୍ୱାରା ପ୍ରତ୍ୟାଦେଶ ପାଇଅଛନ୍ତି। 23ସେଥିରେ ସେ ସେମାନଙ୍କୁ ଭିତରକୁ ଡାକି ନେଇ ସେମାନଙ୍କର ଆତିଥ୍ୟ କଲେ। ତହିଁ ଆରଦିନ ସେ ଉଠି ସେମାନଙ୍କ ସହିତ ପ୍ରସ୍ଥାନ କଲେ, ପୁଣି, ଯାଫୋ ସହରନିବାସୀ ଭାଇମାନଙ୍କ ମଧ୍ୟରୁ କେତେକ ଜଣ ତାହାଙ୍କ ସାଙ୍ଗରେ ଗଲେ। 24ପରଦିନ ସେମାନେ କାଇସରିୟାରେ ପ୍ରବେଶ କଲେ, ଆଉ କର୍ଣ୍ଣିଲୀୟ ଆପଣା ଆତ୍ମୀୟ ଓ ନିକଟସ୍ଥ ବନ୍ଧୁମାନଙ୍କୁ ଡାକି ଏକତ୍ର କରି ସେମାନଙ୍କ ଅପେକ୍ଷାରେ ଥିଲେ। 25ପିତର ପ୍ରବେଶ କରନ୍ତେ କର୍ଣ୍ଣିଲୀୟ ତାହାଙ୍କୁ ଭେଟି ଚରଣ ତଳେ ପଡ଼ି ତାହାଙ୍କୁ ପ୍ରଣାମ କଲେ। 26କିନ୍ତୁ ପିତର ତାହାଙ୍କୁ ଉଠାଇ କହିଲେ, ଠିଆ ହୁଅ; ମୁଁ ମଧ୍ୟ ଜଣେ ମନୁଷ୍ୟ। 27ସେଥିରେ ସେ ତାହାଙ୍କ ସାଙ୍ଗରେ ଆଳାପ କରୁ କରୁ ଭିତରକୁ ଯାଇ ଦେଖିଲେ, ଅନେକ ଲୋକ ଏକତ୍ରିତ ହୋଇଅଛନ୍ତି, 28ଆଉ ସେ ସେମାନଙ୍କୁ କହିଲେ, କୌଣସି ଅଣଯିହୁଦୀ ସାଙ୍ଗରେ ମିଶିବା କିମ୍ବା ତାହା ପାଖକୁ ଯିବା ଯିହୁଦୀ ଲୋକ ପକ୍ଷରେ କିପରି ବିଧିସଙ୍ଗତ ନୁହେଁ, ତାହା ଆପଣମାନେ ଜାଣନ୍ତି; ତଥାପି କୌଣସି ଲୋକକୁ ଅପବିତ୍ର କି ଅଶୁଚି ବୋଲି ନ କହିବାକୁ ଈଶ୍ବର ମୋତେ ଦେଖାଇଅଛନ୍ତି। 29ସେଥିପାଇଁ ମୋତେ ଆହ୍ୱାନ କରାଯିବା ମାତ୍ରେ ମୁଁ ମଧ୍ୟ ଆପତ୍ତି ନ କରି ଆସିଲି। ଏଣୁ ମୁଁ ପଚାରେ, କି ନିମନ୍ତେ ଆପଣମାନେ ମୋତେ ଡକାଇଅଛନ୍ତି? 30କର୍ଣ୍ଣିଲୀୟ କହିଲେ, ଚାରି ଦିନ ପୂର୍ବେ ଠିକ୍ ଏହି ସମୟରେ ମୁଁ ଆପଣା ଗୃହରେ ଅପରାହ୍ନ ତିନି ଘଣ୍ଟା ସମୟର ପ୍ରାର୍ଥନା କରୁଥିଲି; ଆଉ ଦେଖନ୍ତୁ, ଉଜ୍ଜ୍ୱଳବସ୍ତ୍ର ପରିହିତ ଜଣେ ବ୍ୟକ୍ତି ମୋ ସମ୍ମୁଖରେ ଠିଆ ହୋଇ କହିଲେ, କର୍ଣ୍ଣିଲୀୟ, ତୁମ୍ଭର ପ୍ରାର୍ଥନା ଶୁଣାଯାଇଅଛି, 31ପୁଣି, ତୁମ୍ଭର ଦାନସବୁ ଈଶ୍ବରଙ୍କ ସାକ୍ଷାତରେ ସ୍ମରଣ କରାଯାଇଅଛି। 32ଅତଏବ ଯାଫୋ ସହରକୁ ଲୋକ ପଠାଇ ପିତର ଉପନାମପ୍ରାପ୍ତ ଶିମୋନଙ୍କୁ ପାଖକୁ ଡକାଇ ଆଣ, ସେ ସମୁଦ୍ରକୂଳରେ ଶିମୋନ ଚର୍ମକାରକଙ୍କ ଗୃହରେ ଅତିଥି ରୂପେ ବାସ କରୁଅଛନ୍ତି। 33ଏନିମନ୍ତେ ମୁଁ ଅବିଳମ୍ବରେ ଆପଣଙ୍କ ନିକଟକୁ ଲୋକ ପଠାଇଲି, ଆଉ ଆପଣ ଯେ ଆସିଅଛନ୍ତି, ଭଲ କରିଅଛନ୍ତି। ଅତଏବ ପ୍ରଭୁ ଆପଣଙ୍କୁ ଯାହାସବୁ ଆଦେଶ ଦେଇଅଛନ୍ତି, ତାହା ଶୁଣିବା ନିମନ୍ତେ ଆମ୍ଭେମାନେ ସମସ୍ତେ ଈଶ୍ବରଙ୍କ ସାକ୍ଷାତରେ ଉପସ୍ଥିତ ଅଛୁ।

ସୁସମାଚାର

ଯୋହ 7:1–13

1ଏଥିଉତ୍ତାରେ ଯୀଶୁ ଗାଲିଲୀରେ ଭ୍ରମଣ କରିବାକୁ ଲାଗିଲେ, କାରଣ କେତେକ ଯିହୁଦୀ ନେତାମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରୁଥିବାରୁ ସେ ଯିହୂଦିୟା ପ୍ରଦେଶରେ ଭ୍ରମଣ କରିବାକୁ ଇଚ୍ଛା କରୁ ନ ଥିଲେ। 2କିନ୍ତୁ ଯିହୁଦୀମାନଙ୍କର କୁଟୀରବାସ ପର୍ବ ସନ୍ନିକଟ ହୁଅନ୍ତେ, 3ତାହାଙ୍କ ଭାଇମାନେ ତାହାଙ୍କୁ କହିଲେ, ତୁମ୍ଭେ ଯେ ଯେ କର୍ମ କରୁଅଛ, ସେହିସବୁ ଯେପରି ତୁମ୍ଭର ଶିଷ୍ୟମାନେ ମଧ୍ୟ ଦେଖିବେ, ଏନିମନ୍ତେ ଏଠାରୁ ବାହାରିଯାଇ ଯିହୂଦିୟା ପ୍ରଦେଶକୁ ଯାଅ, 4କାରଣ କେହି ପ୍ରକାଶିତ ହେବାକୁ ଇଚ୍ଛା କଲେ ଗୋପନରେ କିଛି କରେ ନାହିଁ। ତୁମ୍ଭେ ଯଦି ଏସମସ୍ତ କରୁଅଛ, ତେବେ ଆପଣାକୁ ଜଗତ ନିକଟରେ ପ୍ରକାଶ କର। 5କାରଣ ତାହାଙ୍କ ଭାଇମାନେ ସୁଦ୍ଧା ତାହାଙ୍କଠାରେ ବିଶ୍ୱାସ କରୁ ନ ଥିଲେ। 6ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ, ମାତ୍ର ତୁମ୍ଭମାନଙ୍କର ସମୟ ସର୍ବଦା ଉପସ୍ଥିତ। 7ଜଗତ ତୁମ୍ଭମାନଙ୍କୁ ଘୃଣା କରିପାରେ ନାହିଁ, କିନ୍ତୁ ମୋତେ ଘୃଣା କରେ, କାରଣ ତାହାର କର୍ମ ଯେ ମନ୍ଦ, ମୁଁ ତାହା ବିଷୟରେ ଏହି ସାକ୍ଷ୍ୟ ଦେଉଅଛି। 8ତୁମ୍ଭେମାନେ ଏହି ପର୍ବକୁ ଯାଅ, ମୁଁ ଏବେ ଏହି ପର୍ବକୁ ଯାଉ ନାହିଁ, କାରଣ ମୋହର ସମୟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ।” 9ସେ ସେମାନଙ୍କୁ ଏହି ସମସ୍ତ କଥା କହି ଗାଲିଲୀରେ ରହିଲେ। 10କିନ୍ତୁ ତାହାଙ୍କ ଭାଇମାନେ ପର୍ବକୁ ଗଲା ଉତ୍ତାରେ ସେ ମଧ୍ୟ ଗଲେ, ପ୍ରକାଶରେ ନୁହେଁ, ମାତ୍ର ଏକ-ପ୍ରକାର ଗୋପନରେ। 11ଏଣୁ ଯିହୁଦୀମାନେ ପର୍ବରେ ତାହାଙ୍କୁ ଖୋଜୁ ଖୋଜୁ ପଚାରିଲେ, ସେ କାହିଁ? 12ଆଉ, ତାହାଙ୍କ ବିଷୟରେ ଲୋକସମୂହ ମଧ୍ୟରେ ବହୁତ ଆନ୍ଦୋଳନ ହେବାକୁ ଲାଗିଲା; କେହି କେହି କହିଲେ, ସେ ଜଣେ ଉତ୍ତମ ଲୋକ; ଆଉ କେହି କେହି କହିଲେ, ନା, ସେ ଲୋକମାନଙ୍କୁ ଭ୍ରାନ୍ତ କରୁଅଛି। 13ତଥାପି ଯିହୁଦୀମାନଙ୍କ ଭୟରେ ତାହାଙ୍କ ବିଷୟରେ ପ୍ରକାଶରେ କେହି କିଛି କହୁ ନ ଥିଲେ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମଇ 12 ନାଗରିକ ପଞ୍ଜିକାର ମଇ 25। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର