Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ମଇ 2027 › ମଇ 30

ଅର୍ଥୋଡକ୍ସ ପଞ୍ଜିକା · 17 ମଇ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 30 ମଇ 2027

ରବିବାର · ସ୍ୱର 4

ପର୍ବ ଓ ସନ୍ଥ

ପାସ୍କାର ପଞ୍ଚମ ରବିବାର

ଶମିରୋଣୀୟା ସ୍ତ୍ରୀର ରବିବାର

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପ୍ରଭାତୀ ପ୍ରାର୍ଥନାର ସପ୍ତମ ସୁସମାଚାର

ଯୋହ 20:1–10

1ସପ୍ତାହର ପ୍ରଥମ ଦିନ ପ୍ରତ୍ୟୁଷରେ ଅନ୍ଧକାର ଥାଉ ଥାଉ ମଗ୍‌ଦଲୀନୀ ମରୀୟମ ସମାଧି ନିକଟକୁ ଆସି ସେଥିରୁ ପଥର ଘୁଞ୍ଚାଯାଇଥିବା ଦେଖିଲେ। 2ତେଣୁ ସେ ଦୌଡ଼ିଯାଇ ଶିମୋନ ପିତର ଓ ଯୀଶୁ ଯାହାଙ୍କୁ ସ୍ନେହ କରୁଥିଲେ, ସେହି ଅନ୍ୟ ଶିଷ୍ୟଙ୍କ ନିକଟକୁ ଆସିଲେ, ଆଉ ସେମାନଙ୍କୁ କହିଲେ, ସେମାନେ ସମାଧିରୁ ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ପୁଣି, ତାହାଙ୍କୁ କେଉଁଠାରେ ରଖିଅଛନ୍ତି, ତାହା ଆମ୍ଭେମାନେ ଜାଣୁ ନାହୁଁ। 3ସେଥିରେ ପିତର ଓ ସେହି ଅନ୍ୟ ଶିଷ୍ୟ ସମାଧି ନିକଟକୁ ଯିବା ପାଇଁ ବାହାରିଲେ। 4ସେମାନେ ଦୁହେଁ ଏକସାଙ୍ଗରେ ଦୌଡ଼ିବାକୁ ଲାଗିଲେ, ଆଉ ସେହି ଅନ୍ୟ ଶିଷ୍ୟ ପିତରଙ୍କୁ ପଛରେ ପକାଇ ଆଗେ ସମାଧି ନିକଟରେ ପହଞ୍ଚିଲେ, 5ପୁଣି, ନଇଁପଡ଼ି ଭିତରକୁ ଚାହିଁ ସରୁ ସୂକ୍ଷ୍ମ ବସ୍ତ୍ର ପଡ଼ିଥିବା ଦେଖିଲେ, ତଥାପି ସେ ଭିତରେ ପଶିଲେ ନାହିଁ। 6ପରେ ଶିମୋନ ପିତର ମଧ୍ୟ ତାହାଙ୍କ ପଛେ ପଛେ ଆସି ପହଞ୍ଚିଲେ ଓ ସମାଧି ଭିତରେ ପ୍ରବେଶ କରି ଦେଖିଲେ ଯେ, ସରୁ ସୂକ୍ଷ୍ମ ବସ୍ତ୍ରଗୁଡ଼ିକ ପଡ଼ିଅଛି, 7ପୁଣି, ତାହାଙ୍କ ମୁଣ୍ଡରେ ଯେଉଁ ଗାମୁଛା ବନ୍ଧା ହୋଇଥିଲା, ତାହା ସରୁ ଲୁଗା ସହିତ ନ ଥାଇ ଅଲଗା ଗୋଟିଏ ସ୍ଥାନରେ ଗୁଡ଼ା ହୋଇ ରହିଅଛି। 8ସେତେବେଳେ ଯେଉଁ ଅନ୍ୟ ଶିଷ୍ୟ ଆଗେ ସମାଧି ନିକଟକୁ ଆସିଥିଲେ, ସେ ମଧ୍ୟ ଭିତରେ ପ୍ରବେଶ କରି ଦେଖିଲେ ଓ ବିଶ୍ୱାସ କଲେ; 9କାରଣ ମୃତମାନଙ୍କ ମଧ୍ୟରୁ ତାହାଙ୍କୁ ଯେ ପୁନରୁତ୍ଥାନ ହେବାକୁ ହେବ, ଧର୍ମଶାସ୍ତ୍ରର ଏହି ବାକ୍ୟ ସେମାନେ ସେପର୍ଯ୍ୟନ୍ତ ବୁଝି ନ ଥିଲେ। 10ପରେ ଶିଷ୍ୟମାନେ ପୁନର୍ବାର ସେମାନଙ୍କ ଗୃହକୁ ଚାଲିଗଲେ।

ପତ୍ର

ପ୍ରେରି 11:19–26, 29–30

19ଇତିମଧ୍ୟରେ ସ୍ତିଫାନଙ୍କ ସକାଶେ ଘଟିଥିବା କ୍ଲେଶ ହେତୁ ଯେଉଁମାନେ ଛିନ୍ନଭିନ୍ନ ହୋଇ ଯାଇଥିଲେ, ସେମାନେ ଫୈନୀକିଆ ଅଞ୍ଚଳ, ସାଇପ୍ରସ୍ ଦ୍ୱୀପ ଓ ଆନ୍ତିୟଖିଆ ସହର ପର୍ଯ୍ୟନ୍ତ ଭ୍ରମଣ କରି କେବଳ ଯିହୁଦୀମାନଙ୍କ ବିନା ଆଉ କାହାରି ନିକଟରେ ବାକ୍ୟ ପ୍ରଚାର କରୁ ନ ଥିଲେ। 20କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ ସାଇପ୍ରସ୍ ଓ କୂରୀଣୀୟ ଲୋକ ଆନ୍ତିୟଖିଆକୁ ଗ୍ରୀକ୍‌ମାନଙ୍କ ନିକଟରେ ମଧ୍ୟ କଥା କହି ପ୍ରଭୁ ଯୀଶୁଙ୍କ ସୁସମାଚାର ପ୍ରଚାର କରିବାକୁ ଲାଗିଲେ। 21ଆଉ ସେମାନଙ୍କ ସହିତ ପ୍ରଭୁଙ୍କର ହସ୍ତ ଥିଲା, ପୁଣି, ଅନେକ ଅନେକ ଲୋକ ବିଶ୍ୱାସ କରି ପ୍ରଭୁଙ୍କ ପ୍ରତି ଫେରିଲେ। 22ସେମାନଙ୍କ ବିଷୟକ ସମ୍ବାଦ ଯିରୂଶାଲମସ୍ଥ ମଣ୍ଡଳୀର କର୍ଣ୍ଣଗୋଚର ହେଲା, ସେଥିରେ ସେମାନେ ଆନ୍ତିୟଖିଆ ପର୍ଯ୍ୟନ୍ତ ବର୍ଣ୍ଣବ୍ବାଙ୍କୁ ପ୍ରେରଣ କଲେ। 23ସେ ଉପସ୍ଥିତ ହୋଇ ଈଶ୍ବରଙ୍କର ଅନୁଗ୍ରହ ଦେଖି ଆନନ୍ଦିତ ହେଲେ, ଆଉ ଯେପରି ସେମାନେ ହୃଦୟର ଏକାଗ୍ରତାରେ ପ୍ରଭୁଙ୍କ ପ୍ରତି ଆସକ୍ତ ହୋଇ ରୁହନ୍ତି, ସେଥିନିମନ୍ତେ ସମସ୍ତଙ୍କୁ ଉତ୍ସାହ ଦେଲେ; 24କାରଣ ସେ ଜଣେ ଉତ୍ତମ ବ୍ୟକ୍ତି, ପୁଣି, ପବିତ୍ର ଆତ୍ମା ଓ ବିଶ୍ୱାସରେ ପରିପୂର୍ଣ୍ଣ ଥିଲେ। ଏହି ପ୍ରକାରେ ଅନେକ ଅନେକ ଲୋକ ପ୍ରଭୁଙ୍କଠାରେ ସଂଯୁକ୍ତ ହେଲେ। 25ପରେ ସେ ଶାଉଲଙ୍କୁ ଖୋଜିବା ପାଇଁ ତାର୍ଷକୁ ବାହାରିଗଲେ, 26ପୁଣି, ସେ ତାହାଙ୍କୁ ପାଇ ଆନ୍ତିୟଖିଆକୁ ଘେନି ଆସିଲେ। ସେମାନେ ସମ୍ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ମଣ୍ଡଳୀର ସହିତ ରହି ଅନେକ ଲୋକଙ୍କୁ ଶିକ୍ଷା ଦେଲେ, ପୁଣି, ଆନ୍ତିୟଖିଆରେ ଶିଷ୍ୟମାନେ ପ୍ରଥମରେ ଖ୍ରୀଷ୍ଟିୟାନ ବୋଲି ନାମିତ ହେଲେ। 29ସେଥିରେ ଶିଷ୍ୟମାନେ ପ୍ରତ୍ୟେକ ଜଣ ଆପଣା ଶକ୍ତି ଅନୁସାରେ ଯିହୂଦିୟା ପ୍ରଦେଶ ନିବାସୀ ଭାଇମାନଙ୍କ ନିମନ୍ତେ ସାହାଯ୍ୟ ପ୍ରେରଣ କରିବାକୁ ସ୍ଥିର କଲେ, 30ଆଉ ସେମାନେ ମଧ୍ୟ ତାହା କରି ବର୍ଣ୍ଣବ୍ବା ଓ ଶାଉଲଙ୍କ ହସ୍ତରେ ପ୍ରାଚୀନମାନଙ୍କ ନିକଟକୁ ପଠାଇଦେଲେ।

ସୁସମାଚାର

ଯୋହ 4:5–42

5ତେଣୁ ସେ ଯାଇ ଯାକୁବ ଆପଣା ପୁତ୍ର ଯୋଷେଫଙ୍କୁ ଯେଉଁ ଭୂମିଖଣ୍ଡିକ ଦାନ କରିଥିଲେ, ସେଥିର ନିକଟବର୍ତ୍ତୀ ସୁଖାର ନାମକ ଶମିରୋଣର ଗୋଟିଏ ନଗରରେ ପହଞ୍ଚିଲେ; 6ସେହି ସ୍ଥାନରେ ଯାକୁବଙ୍କ କୂପ ଥିଲା। ଅତଏବ, ଯୀଶୁ ପଥଶ୍ରାନ୍ତ ହୋଇଥିବାରୁ ସେହି କୂପ ନିକଟରେ ବସିପଡ଼ିଲେ। ସେତେବେଳେ ମଧ୍ୟାହ୍ନ ହୋଇଥିଲା। 7ଆଉ, ଜଣେ ଶମିରୋଣୀୟା ସ୍ତ୍ରୀ ପାଣି କାଢ଼ିବା ନିମନ୍ତେ ଆସିଲା। ଯୀଶୁ ତାହାକୁ କହିଲେ, “ମୋତେ ପିଇବାକୁ ଦିଅ।” 8କାରଣ ତାହାଙ୍କର ଶିଷ୍ୟମାନେ ଖାଦ୍ୟ କିଣିବା ନିମନ୍ତେ ନଗରକୁ ଯାଇଥିଲେ। 9ସେଥିରେ ଶମିରୋଣୀୟା ସ୍ତ୍ରୀ ତାହାଙ୍କୁ କହିଲା, ଆପଣ ଜଣେ ଯିହୁଦୀ ହୋଇ କିପରି ଶମିରୋଣୀୟା ସ୍ତ୍ରୀ ଯେ ମୁଁ, ମୋʼ ହାତରୁ ପିଇବାକୁ ମାଗୁଅଛନ୍ତି? କାରଣ ଶମିରୋଣୀୟମାନଙ୍କ ସହିତ ଯିହୁଦୀମାନଙ୍କର ବ୍ୟବହାର ନାହିଁ। 10ଯୀଶୁ ତାହାକୁ ଉତ୍ତର ଦେଲେ, “ଈଶ୍ବରଙ୍କ ଦାନ ଓ ମୋତେ ପିଇବାକୁ ଦିଅ ବୋଲି ଯେ ତୁମ୍ଭକୁ କହୁଅଛନ୍ତି, ସେ କିଏ, ଏହା ଯଦି ତୁମ୍ଭେ ଜାଣିଥାଆନ୍ତ, ତାହାହେଲେ ତୁମ୍ଭେ ତାହାଙ୍କୁ ମାଗିଥାଆନ୍ତ, ଆଉ ସେ ତୁମ୍ଭକୁ ଜୀବନ୍ତ ଜଳ ଦେଇଥାଆନ୍ତେ।” 11ସେହି ସ୍ତ୍ରୀଲୋକ ତାହାଙ୍କୁ କହିଲା, ମହାଶୟ, ଜଳ କାଢ଼ିବା ନିମନ୍ତେ ଆପଣଙ୍କ ନିକଟରେ କୌଣସି ପାତ୍ର ନାହିଁ ପୁଣି, କୂଅ ତ ଗଭୀର; ତେବେ ଆପଣ କେଉଁଠାରୁ ସେହି ଜୀବନ୍ତ ଜଳ ପାଇଅଛନ୍ତି? 12ଆମ୍ଭମାନଙ୍କର ଯେଉଁ ପିତୃ-ପୁରୁଷ ଯାକୁବ ଆମ୍ଭମାନଙ୍କୁ ଏହି କୂଅ ଦେଇଥିଲେ, ଆଉ ଆପେ, ପୁଣି, ତାହାଙ୍କ ପୁତ୍ରମାନେ ଓ ପଶୁପଲ ଏଥିରୁ ପାନ କରିଥିଲେ, ତାଙ୍କଠାରୁ କି ଆପଣ ଶ୍ରେଷ୍ଠ? 13ଯୀଶୁ ତାହାକୁ ଉତ୍ତର ଦେଲେ, “ଯେ କେହି ଏହି ଜଳ ପାନ କରେ, ସେ ପୁନର୍ବାର ତୃଷିତ ହେବ; 14କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେ କେହି ପାନ କରିବ, ସେ କେବେ ହେଁ ତୃଷିତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନଦାୟକ ଜଳର ନିର୍ଝର ସ୍ୱରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ।” 15ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମହାଶୟ, ମୋତେ ଯେପରି ଶୋଷ ନ ଲାଗେ, ପୁଣି, ପାଣି କାଢ଼ିବା ନିମନ୍ତେ ଏତେ ବାଟ ଏଠାକୁ ଆସିବାକୁ ନ ପଡ଼େ, ଏଥିନିମନ୍ତେ ମୋତେ ସେହି ଜଳ ଦିଅନ୍ତୁ। 16ଯୀଶୁ ତାହାକୁ କହିଲେ, “ଯାଅ, ତୁମ୍ଭ ସ୍ୱାମୀକୁ ଡାକି ଏଠାକୁ ଆସ।” 17ସ୍ତ୍ରୀଲୋକଟି ତାହାଙ୍କୁ ଉତ୍ତର ଦେଲା, ମୋହର ସ୍ୱାମୀ ନାହିଁ। ଯୀଶୁ ତାହାଙ୍କୁ କହିଲେ, “ମୋହର ସ୍ୱାମୀ ନାହିଁ, ଏହା ତ ଠିକ୍ କହିଲ; 18କାରଣ ତୁମ୍ଭର ପାଞ୍ଚ ସ୍ୱାମୀ ଥିଲେ, ଆଉ ବର୍ତ୍ତମାନ ତୁମ୍ଭ ପାଖରେ ଯେ ଅଛି, ସେ ତୁମ୍ଭର ସ୍ୱାମୀ ନୁହେଁ; ଏହା ସତ୍ୟ କହିଅଛ।” 19ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମହାଶୟ, ଆପଣ ଯେ ଜଣେ ଭାବବାଦୀ, ଏହା ମୁଁ ଜାଣି ପାରୁଅଛି। 20ଆମ୍ଭମାନଙ୍କ ପିତୃ-ପୁରୁଷମାନେ ଏହି ପର୍ବତରେ ଉପାସନା କଲେ; ଆଉ, ଆପଣମାନେ କହୁଅଛନ୍ତି, ଯେଉଁ ସ୍ଥାନରେ ଉପାସନା କରିବା ଉଚିତ, ତାହା ଯିରୂଶାଲମ ସହରରେ ଅଛି। 21ଯୀଶୁ ତାହାକୁ କହିଲେ, “ଆଗୋ ନାରୀ, ମୋʼ କଥା ବିଶ୍ୱାସ କର, ଯେଉଁ ସମୟରେ ତୁମ୍ଭେମାନେ ଏହି ପର୍ବତରେ କିମ୍ବା ଯିରୂଶାଲମ ସହରରେ ପିତାଙ୍କର ଉପାସନା କରିବ ନାହିଁ, ଏପରି ସମୟ ଆସୁଅଛି। 22ଯାହାକୁ ତୁମ୍ଭେମାନେ ଜାଣ ନାହିଁ, ତାହାକୁ ଉପାସନା କରୁଥାଅ; ଯାହାଙ୍କୁ ଆମ୍ଭେମାନେ ଜାଣୁ, ତାହାଙ୍କୁ ଉପାସନା କରୁଥାଉ, କାରଣ ପରିତ୍ରାଣ ଯିହୁଦୀମାନଙ୍କ ମଧ୍ୟରୁ ଆସେ। 23କିନ୍ତୁ ଯେଉଁ ସମୟରେ ସତ୍ୟ ଉପାସକମାନେ ଆତ୍ମାରେ ଓ ସତ୍ୟରେ ଈଶ୍ବର ପିତାଙ୍କର ଉପାସନା କରିବେ, ସେପରି ସମୟ ଆସୁଅଛି; ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ; କାରଣ ପିତା ଏହି ପ୍ରକାର ଉପାସକ ଚାହାନ୍ତି। 24ଈଶ୍ବର ଆତ୍ମା ଅଟନ୍ତି, ପୁଣି, ଯେଉଁମାନେ ତାହାଙ୍କର ଉପାସନା କରନ୍ତି, ସେମାନେ ଆତ୍ମାରେ ଓ ସତ୍ୟରେ ଉପାସନା କରିବା ଉଚିତ।” 25ସ୍ତ୍ରୀଲୋକଟି ତାହାଙ୍କୁ କହିଲା, ମସୀହ, ଯାହାଙ୍କୁ ଖ୍ରୀଷ୍ଟ କହନ୍ତି, ସେ ଆସୁଅଛନ୍ତି ବୋଲି ମୁଁ ଜାଣେ; ଯେତେବେଳେ ସେ ଆସିବେ, ସେ ଆମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ। 26ଯୀଶୁ ତାହାକୁ କହିଲେ, “ତୁମ୍ଭ ସହିତ କଥା କହୁଅଛି ଯେ ମୁଁ, ମୁଁ ସେହି ଅଟେ।” 27ଏପରି ସମୟରେ ତାହାଙ୍କର ଶିଷ୍ୟମାନେ ଆସି ତାହାଙ୍କୁ ଜଣେ ସ୍ତ୍ରୀଲୋକ ସହିତ କଥାବାର୍ତ୍ତା କରୁଥିବା ଦେଖି ଚମତ୍କୃତ ହେଲେ, ତଥାପି ଆପଣ କଅଣ ଚାହାନ୍ତି, କିମ୍ବା କାହିଁକି ତାହା ସାଙ୍ଗରେ କଥା କହୁଅଛନ୍ତି, ଏହା କେହି ପଚାରିଲେ ନାହିଁ। 28ସେଥିରେ ସେହି ସ୍ତ୍ରୀ ଆପଣା ଜାହାଲା ଥୋଇଦେଇ ନଗରକୁ ଯାଇ ଲୋକମାନଙ୍କୁ କହିଲା, ଆସ, ଜଣଙ୍କୁ ଦେଖିବ, 29ମୁଁ ଯାହା ଯାହା କରିଅଛି, ସେହିସବୁ ସେ ମୋତେ କହିଲେ; ସେ କେଜାଣି ଖ୍ରୀଷ୍ଟ ହେବେ ପରା? 30ଏଥିରେ ଲୋକେ ନଗରରୁ ବାହାରି ତାହାଙ୍କ ନିକଟକୁ ଯିବାକୁ ଲାଗିଲେ। 31ଇତିମଧ୍ୟରେ ଶିଷ୍ୟମାନେ ତାହାଙ୍କୁ ଅନୁରୋଧ କରି କହିଲେ, ହେ ଗୁରୁ, ଭୋଜନ କରନ୍ତୁ। 32କିନ୍ତୁ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯେଉଁ ଖାଦ୍ୟ ବିଷୟ ଜାଣ ନାହିଁ, ଭୋଜନ କରିବା ନିମନ୍ତେ ମୋହର ଏପରି ଖାଦ୍ୟ ଅଛି।” 33ତେଣୁ ଶିଷ୍ୟମାନେ ପରସ୍ପର କହିବାକୁ ଲାଗିଲେ, କେହି ତାହାଙ୍କୁ ଖାଦ୍ୟ ଆଣି ଦେଇଅଛି ପରା? 34ଯୀଶୁ ସେମାନଙ୍କୁ କହିଲେ, “ମୋହର ପ୍ରେରଣକର୍ତ୍ତାଙ୍କ ଇଚ୍ଛା ସାଧନ କରିବା ଓ ତାହାଙ୍କର କାର୍ଯ୍ୟ ସମାପ୍ତ କରିବା, ଏହା ହିଁ ମୋହର ଖାଦ୍ୟ। 35ଶସ୍ୟ କାଟିବାକୁ ଆହୁରି ଚାରି ମାସ ଅଛି, ଏହା କି ତୁମ୍ଭେମାନେ କହୁ ନାହଁ? ଦେଖ, ମୁଁ ତୁମ୍ଭମାନଙ୍କୁ କହୁଅଛି, କ୍ଷେତ୍ରଗୁଡ଼ିକ ପ୍ରତି ଦୃଷ୍ଟିପାତ କର; ସେହିସବୁ କଟାଯିବା ନିମନ୍ତେ ପାଚିଗଲାଣି। 36ଏବେ ସୁଦ୍ଧା କଟାଳି ମୂଳ ପାଉଅଛି ଓ ଅନନ୍ତ ଜୀବନ ନିମନ୍ତେ ଫଳ ସଂଗ୍ରହ କରୁଅଛି, ଯେପରି ବୁଣାଳୀ ଓ କଟାଳି ଉଭୟ ମିଳି ଆନନ୍ଦ କରନ୍ତି। 37କାରଣ ଜଣେ ବୁଣେ ଓ ଅନ୍ୟ ଜଣେ କାଟେ, ଏହି କଥା ଏ ସମ୍ବନ୍ଧରେ ସତ୍ୟ। 38ତୁମ୍ଭେମାନେ ଯାହା ନିମନ୍ତେ ପରିଶ୍ରମ କରି ନାହଁ, ତାହା କାଟିବା ପାଇଁ ମୁଁ ତୁମ୍ଭମାନଙ୍କୁ ପଠାଇଲି; ଅନ୍ୟମାନେ ପରିଶ୍ରମ କରିଅଛନ୍ତି, ଆଉ ତୁମ୍ଭେମାନେ ସେମାନଙ୍କ ପରିଶ୍ରମର ଫଳ ପାଉଅଛ।” 39ମୁଁ ଯାହା ଯାହା କରିଅଛି, ସେହିସବୁ ସେ ମୋତେ କହିଲେ ବୋଲି ଯେଉଁ ସ୍ତ୍ରୀଲୋକ ସାକ୍ଷ୍ୟ ଦେଇଥିଲା, ତାହାର କଥା ହେତୁ ସେହି ନଗରର ଶମିରୋଣୀୟମାନଙ୍କ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ। 40ଅତଏବ, ସେହି ଶମିରୋଣୀୟମାନେ ତାହାଙ୍କ ନିକଟକୁ ଆସି ସେମାନଙ୍କ ସହିତ ରହିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ, ଆଉ ସେ ଦୁଇ ଦିନ ସେ ସ୍ଥାନରେ ରହିଲେ। 41ପୁଣି, ତାହାଙ୍କ ବାକ୍ୟ ହେତୁ ଆହୁରି ଅନେକ ଲୋକ ବିଶ୍ୱାସ କଲେ। 42ଆଉ, ସେମାନେ ସେହି ସ୍ତ୍ରୀଲୋକକୁ କହିଲେ, ଏବେ ତୁମ୍ଭ କଥା ହେତୁ ଆମ୍ଭେମାନେ ବିଶ୍ୱାସ କରୁ ନାହୁଁ, ବରଂ ଆମ୍ଭେମାନେ ନିଜେ ନିଜେ ଶୁଣିଅଛୁ, ପୁଣି, ଏ ଯେ ପ୍ରକୃତରେ ଜଗତର ତ୍ରାଣକର୍ତ୍ତା, ଏହା ଆମ୍ଭେମାନେ ଜାଣିଅଛୁ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମଇ 17 ନାଗରିକ ପଞ୍ଜିକାର ମଇ 30। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର