Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 6

ଅର୍ଥୋଡକ୍ସ ପଞ୍ଜିକା · 24 ମଇ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 6 ଜୁନ 2027

ରବିବାର · ସ୍ୱର 5

ପର୍ବ ଓ ସନ୍ଥ

ପାସ୍କାର ଷଷ୍ଠ ରବିବାର

ଜନ୍ମାନ୍ଧ ଲୋକର ରବିବାର

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପ୍ରଭାତୀ ପ୍ରାର୍ଥନାର ଅଷ୍ଟମ ସୁସମାଚାର

ଯୋହ 20:11–18

11କିନ୍ତୁ ମରୀୟମ ରୋଦନ କରୁ କରୁ ବାହାରେ ସମାଧି ନିକଟରେ ଠିଆ ହୋଇ ରହିଲେ; ପୁଣି, ରୋଦନ କରୁ କରୁ ସେ ନଇଁପଡ଼ି ସମାଧି ଭିତରକୁ ଚାହିଁ, 12ଯୀଶୁଙ୍କ ଶରୀର ଯେଉଁ ସ୍ଥାନରେ ରଖାଯାଇଥିଲା, ସେଥିର ମୁଣ୍ଡ ପାଖରେ ଜଣେ ଓ ପାଦ ପାଖରେ ଆଉ ଜଣେ, ଏହିପରି ଦୁଇ ଜଣ ଶୁକ୍ଳ ବସ୍ତ୍ର ପରିହିତ ଦୂତଙ୍କୁ ବସିଥିବା ଦେଖିଲେ। 13ସେମାନେ ତାହାଙ୍କୁ କହିଲେ, ଗୋ ନାରୀ, କାହିଁକି ରୋଦନ କରୁଅଛ? ସେ ସେମାନଙ୍କୁ କହିଲେ, କେଉଁମାନେ ମୋହର ପ୍ରଭୁଙ୍କୁ ଘେନିଯାଇଅଛନ୍ତି, ଆଉ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ତାହା ମୁଁ ଜାଣେ ନାହିଁ। 14ସେ ଏହା କହି ପଛକୁ ବୁଲିପଡ଼ି ଯୀଶୁଙ୍କୁ ଠିଆ ହୋଇଥିବା ଦେଖିଲେ, କିନ୍ତୁ ସେ ଯେ ଯୀଶୁ, ତାହା ଜାଣିଲେ ନାହିଁ। 15ଯୀଶୁ ତାହାଙ୍କୁ କହିଲେ, “ଗୋ ନାରୀ, କାହିଁକି ରୋଦନ କରୁଅଛ? କାହାର ଅନ୍ୱେଷଣ କରୁଅଛ?” ସେ ତାହାଙ୍କୁ ଉଦ୍ୟାନର ମାଳୀ ବୋଲି ମନେ କରି କହିଲେ, ମହାଶୟ, ଆପଣ ଯଦି ତାହାଙ୍କୁ ଘେନିଯାଇଅଛନ୍ତି, ତାହାହେଲେ ତାହାଙ୍କୁ କେଉଁ ସ୍ଥାନରେ ରଖିଅଛନ୍ତି, ମୋତେ କୁହନ୍ତୁ, ଆଉ ମୁଁ ତାହାଙ୍କୁ ଘେନିଯିବି। 16ଯୀଶୁ ତାହାଙ୍କୁ କହିଲେ, “ମରୀୟମ।” ସେ ବୁଲିପଡ଼ି ଏବ୍ରୀ ଭାଷାରେ ତାହାଙ୍କୁ କହିଲେ, ରାବ୍ବୂନୀ, ଅର୍ଥାତ୍‍, ହେ ଗୁରୁ। 17ଯୀଶୁ ତାହାଙ୍କୁ କହିଲେ, “ମୋତେ ଧରି ରଖ ନାହିଁ, କାରଣ ମୁଁ ଏପର୍ଯ୍ୟନ୍ତ ପିତାଙ୍କ ନିକଟକୁ ଆରୋହଣ କରି ନାହିଁ; କିନ୍ତୁ ମୋହର ଭାଇମାନଙ୍କ ନିକଟକୁ ଯାଇ ସେମାନଙ୍କୁ କୁହ, ‘ମୁଁ ମୋହର ପିତା ଓ ତୁମ୍ଭମାନଙ୍କର ପିତା, ମୋହର ଈଶ୍ବର ଓ ତୁମ୍ଭମାନଙ୍କର ଈଶ୍ବରଙ୍କ ନିକଟକୁ ଆରୋହଣ କରୁଅଛି।’” 18ମଗ୍‌ଦଲୀନୀ ମରୀୟମ ଯାଇ, ମୁଁ ପ୍ରଭୁଙ୍କୁ ଦେଖିଅଛି, ଆଉ ସେ ମୋତେ ଏହିସବୁ କହିଅଛନ୍ତି ବୋଲି ଶିଷ୍ୟମାନଙ୍କୁ ସମ୍ବାଦ ଦେଲେ।

ପତ୍ର

ପ୍ରେରି 16:16–34

16ଦିନେ ଆମ୍ଭେମାନେ ପ୍ରାର୍ଥନା ସ୍ଥାନକୁ ଯାଉ ଯାଉ ଦୈବଜ୍ଞ ଆତ୍ମାବିଷ୍ଟ ଜଣେ ଦାସୀ ଆମ୍ଭମାନଙ୍କୁ ଭେଟିଲା, ତାହାର ଭାଗ୍ୟଗଣନା ଦ୍ୱାରା ତାହାର କର୍ତ୍ତାମାନଙ୍କର ବହୁତ ଲାଭ ହେଉଥିଲା। 17ସେ ପାଉଲ ଓ ଆମ୍ଭମାନଙ୍କର ପଛେ ପଛେ ଆସି ଚିତ୍କାର କରି କହିବାକୁ ଲାଗିଲା, ଏହି ବ୍ୟକ୍ତିମାନେ ପରମ ପ୍ରଧାନ ଈଶ୍ବରଙ୍କର ଦାସ, ସେମାନେ ତୁମ୍ଭମାନଙ୍କୁ ପରିତ୍ରାଣର ପଥ ଜଣାଉଅଛନ୍ତି। 18ସେ ଅନେକ ଦିନ ପର୍ଯ୍ୟନ୍ତ ଏହା କଲା। କିନ୍ତୁ ପାଉଲ ବିରକ୍ତ ହୋଇ ବୁଲିପଡ଼ି ସେହି ଆତ୍ମାକୁ କହିଲେ, ତାହାଠାରୁ ବାହାରିଯିବାକୁ ମୁଁ ତୋତେ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଦେଉଅଛି। ଏଥିରେ ସେ ସେହି ମୁହୂର୍ତ୍ତରେ ବାହାରିଗଲା। 19କିନ୍ତୁ ତାହାର କର୍ତ୍ତାମାନେ ଆପଣାମାନଙ୍କ ଲାଭର ଆଶା ଚାଲିଗଲା ବୋଲି ଦେଖି ପାଉଲ ଓ ଶୀଲାଙ୍କୁ ଧରି ସେମାନଙ୍କୁ ଛକସ୍ଥାନକୁ ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣି ଘେନିଗଲେ। 20ଆଉ ସେମାନେ ସେମାନଙ୍କ ବିଚାରକର୍ତ୍ତାମାନଙ୍କ ନିକଟକୁ ଆଣି କହିଲେ, ଏହି ଲୋକଗୁଡ଼ାକ ଯିହୁଦୀ, ଏମାନେ ଆମ୍ଭମାନଙ୍କ ନଗରରେ ଗୋଳମାଳ କରୁଅଛନ୍ତି। 21ଆମ୍ଭ ରୋମୀୟ ଲୋକମାନଙ୍କର ଯେଉଁ ସବୁ ରୀତିନୀତି ଗ୍ରହଣ ବା ପାଳନ କରିବା ବିଧିସଙ୍ଗତ ନୁହେଁ, ତାହା ଏମାନେ ପ୍ରଚାର କରୁଅଛନ୍ତି। 22ସେଥିରେ ଲୋକସମୂହ ମଧ୍ୟ ସେମାନଙ୍କ ବିରୁଦ୍ଧରେ ଉଠିଲେ, ପୁଣି, ବିଚାରକର୍ତ୍ତାମାନେ ସେମାନଙ୍କର ବସ୍ତ୍ର କାଢ଼ିପକାଇ ସେମାନଙ୍କୁ ବେତ୍ରାଘାତ କରିବା ପାଇଁ ଆଜ୍ଞା ଦେଲେ। 23ସେମାନେ ସେମାନଙ୍କୁ ବହୁତ ପ୍ରହାର କରାଇଲା ଉତ୍ତାରେ କାରାଗାରରେ ନିକ୍ଷେପ କରି ସେମାନଙ୍କୁ ସାବଧାନରେ ରକ୍ଷା କରିବା ନିମନ୍ତେ କାରାରକ୍ଷକଙ୍କୁ ଦୃଢ଼ ଆଜ୍ଞା ଦେଲେ। 24ସେ ଏହି ପ୍ରକାର ଦୃଢ଼ ଆଜ୍ଞା ପ୍ରାପ୍ତ ହୋଇ ସେମାନଙ୍କୁ ଭିତର କାରାଗାରରେ ନିକ୍ଷେପ କରି ସେମାନଙ୍କ ପାଦରେ ବଡ଼ କାଠଗଣ୍ଡି ବାନ୍ଧିଦେଲେ। 25କିନ୍ତୁ ପ୍ରାୟ ମଧ୍ୟରାତ୍ରରେ ପାଉଲ ଓ ଶୀଲା ଈଶ୍ବରଙ୍କ ନିକଟରେ ପ୍ରାର୍ଥନା ଓ ସ୍ତବଗାନ କରୁଥିଲେ, ଆଉ ବନ୍ଦୀମାନେ ଶୁଣୁଥିଲେ। 26ସେତେବେଳେ ହଠାତ୍‍ ଏପରି ମହା ଭୂମିକମ୍ପ ହେଲା ଯେ, କାରାଗାରର ଭିତ୍ତିମୂଳ କମ୍ପିବାକୁ ଲାଗିଲା, ଆଉ ତତ୍‌କ୍ଷଣାତ୍ ସମସ୍ତ ଦ୍ୱାର ଖୋଲା ହୋଇଗଲା, ପୁଣି, ପ୍ରତ୍ୟେକ ଜଣର ବନ୍ଧନ ଫିଟିଗଲା। 27ଏଥିରେ କାରାରକ୍ଷକ ନିଦ୍ରାରୁ ଉଠି କାରାଗାରର ଦ୍ୱାର ଖୋଲା ହେବା ଦେଖି ବନ୍ଦୀମାନେ ପଳାଇଯାଇଅଛନ୍ତି ବୋଲି ମନେ କରି, ଖଣ୍ଡା ବାହାର କରି ଆପଣାକୁ ବଧ କରିବାକୁ ଯାଉଥିଲେ। 28କିନ୍ତୁ ପାଉଲ ଉଚ୍ଚସ୍ୱରରେ ଡାକି କହିଲେ, ଆପଣାର କୌଣସି କ୍ଷତି କର ନାହିଁ, କାରଣ ଆମ୍ଭେମାନେ ସମସ୍ତେ ଏଠାରେ ଅଛୁ। 29ସେଥିରେ ସେ ଦୀପ ଆଣିବାକୁ କହି ଡେଇଁପଡ଼ି ଭୟରେ ଥରି ଥରି ପାଉଲ ଓ ଶୀଲାଙ୍କର ସମ୍ମୁଖରେ ପଡ଼ିଗଲେ, 30ଆଉ ସେମାନଙ୍କୁ ବାହାରକୁ ଆଣି କହିଲେ, ମହାଶୟମାନେ, ପରିତ୍ରାଣ ପାଇବା ନିମନ୍ତେ ମୋତେ କଅଣ କରିବାକୁ ହେବ? 31ସେମାନେ କହିଲେ, ପ୍ରଭୁ ଯୀଶୁଙ୍କଠାରେ ବିଶ୍ୱାସ କର, ତାହାହେଲେ ତୁମ୍ଭେ ଏବଂ ତୁମ୍ଭ ସପରିବାର ପରିତ୍ରାଣ ପାଇବ। 32ପରେ ସେମାନେ ତାହାଙ୍କୁ ଓ ତାହାଙ୍କ ଗୃହରେ ଥିବା ସମସ୍ତଙ୍କୁ ଈଶ୍ବରଙ୍କ ବାକ୍ୟ କହିଲେ। 33ଆଉ ସେ ସେମାନଙ୍କୁ ରାତ୍ରିର ସେହି ସମୟରେ ଘେନିଯାଇ ସେମାନଙ୍କ ପ୍ରହାରର କ୍ଷତସବୁ ଧୋଇଦେଲେ, ପୁଣି, ସେ ଓ ତାହାଙ୍କର ସମସ୍ତେ ସେହିକ୍ଷଣି ବାପ୍ତିଜିତ ହେଲେ। 34ସେଥିରେ ସେ ସେମାନଙ୍କୁ ଆପଣା ଗୃହକୁ ଘେନିଯାଇ ଖାଦ୍ୟ ପରିବେଷଣ କଲେ, ଆଉ ସମସ୍ତ ପରିବାର ସହିତ ଈଶ୍ବରଙ୍କଠାରେ ବିଶ୍ୱାସ କରି ଅତ୍ୟନ୍ତ ଆନନ୍ଦିତ ହେଲେ।

ସୁସମାଚାର

ଯୋହ 9:1–38

1ଯୀଶୁ ଯାଉଥିବା ସମୟରେ ଜଣେ ଜନ୍ମାନ୍ଧକୁ ଦେଖିଲେ। 2ଆଉ, ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, କିଏ ପାପ କରିବାରୁ ଏ ଅନ୍ଧ ହୋଇ ଜନ୍ମ ହେଲା? ନିଜେ ନା ଏହାର ପିତାମାତା? 3ଯୀଶୁ ଉତ୍ତର ଦେଲେ, “ଏ କିମ୍ବା ଏହାର ପିତାମାତା ପାପ କଲେ ନାହିଁ, କିନ୍ତୁ ଈଶ୍ବରଙ୍କ କର୍ମ ଯେପରି ଏହାଠାରେ ପ୍ରକାଶିତ ହୁଏ, ଏନିମନ୍ତେ ଏହା ଘଟିଅଛି। 4ଦିନ ଥାଉ ଥାଉ ମୋହର ପ୍ରେରଣକର୍ତ୍ତାଙ୍କ କର୍ମ କରିବା ଆମ୍ଭମାନଙ୍କ କର୍ତ୍ତବ୍ୟ; ଯେଉଁ ସମୟରେ କେହି କର୍ମ କରିପାରେ ନାହିଁ, ଏପରି ରାତ୍ରି ଆସୁଅଛି। 5ମୁଁ ଯେପର୍ଯ୍ୟନ୍ତ ଜଗତରେ ଅଛି, ସେପର୍ଯ୍ୟନ୍ତ ମୁଁ ଜଗତର ଜ୍ୟୋତିଃ।” 6ଏହା କହି ସେ ମାଟିରେ ଛେପ ପକାଇ ସେହି ଛେପରେ କାଦୁଅ କଲେ, ଆଉ ତାହାର ଦୁଇ ଆଖିରେ କାଦୁଅ ଲଗାଇଲେ ଏବଂ ତାହାକୁ କହିଲେ, 7ଯାଅ, ଶୀଲୋହ (ଅନୁବାଦ କଲେ, ଏହାର ଅର୍ଥ ପ୍ରେରିତ) “ପୋଖରୀରେ ଧୋଇ ହୁଅ।” ସେଥିରେ ସେ ବାହାରିଯାଇ ଧୋଇ ହେଲା ଓ ଦୃଷ୍ଟି ପାଇ ଚାଲିଗଲା। 8ତେଣୁ ପ୍ରତିବାସୀମାନେ, ପୁଣି, ଯେଉଁମାନେ ତାହାକୁ ପୂର୍ବେ ଜଣେ ଭିକାରୀ ବୋଲି ଦେଖିଥିଲେ, ସେମାନେ ପଚାରିଲେ, ଯେ ବସି ଭିକ ମାଗୁଥିଲା, ଏ କଅଣ ସେହି ନୁହେଁ? 9କେହି କେହି କହିଲେ, ଏ ସେ; ଆଉ କେହି କେହି କହିଲେ, ନା, ଏ ତାହା ପରି। ସେ କହିଲା, ମୁଁ ସେହି। 10ସେଥିରେ ସେମାନେ ତାହାକୁ କହିଲେ, ତାହାହେଲେ ତୋର ଆଖି କିପରି ଫିଟିଗଲା? 11ସେ ଉତ୍ତର ଦେଲା, ଯାହାଙ୍କୁ ଯୀଶୁ ବୋଲି କହନ୍ତି, ସେହି ବ୍ୟକ୍ତି କାଦୁଅ କରି ମୋହର ଦୁଇ ଆଖିରେ ଲଗାଇଲେ ଏବଂ ମୋତେ କହିଲେ, ଶୀଲୋହ ପୋଖରୀକୁ ଯାଇ ଧୋଇ ହୁଅ; ତେଣୁ ମୁଁ ବାହାରିଯାଇ ଧୋଇ ହେଲି ଓ ଦୃଷ୍ଟି ପାଇଲି। 12ସେମାନେ ତାହାକୁ ପଚାରିଲେ, ସେ କାହିଁ? ସେ କହିଲା, ମୁଁ ଜାଣେ ନାହିଁ। 13ଯେ ପୂର୍ବରେ ଅନ୍ଧ ଥିଲା, ସେମାନେ ତାହାକୁ ଫାରୂଶୀମାନଙ୍କ ନିକଟକୁ ଆଣିଲେ। 14ଯୀଶୁ ଯେଉଁ ଦିନ କାଦୁଅ କରି ତାହାର ଆଖି ଫିଟାଇ ଦେଇଥିଲେ, ସେହି ଦିନ ବିଶ୍ରାମବାର। 15ଅତଏବ, ସେ କିପରି ଦୃଷ୍ଟି ପାଇଲା, ଏହା ଫାରୂଶୀମାନେ ମଧ୍ୟ ତାହାକୁ ଆଉ ଥରେ ପଚାରିବାକୁ ଲାଗିଲେ। ସେଥିରେ ସେ ସେମାନଙ୍କୁ କହିଲା, ସେ ମୋହର ଆଖିରେ କାଦୁଅ ଲଗାଇଦେଲେ, ପରେ ମୁଁ ଧୋଇ ହେଲି ଓ ଦେଖି ପାରୁଅଛି। 16ତହୁଁ ଫାରୂଶୀମାନଙ୍କ ମଧ୍ୟରୁ କେହି କେହି କହିଲେ, ସେ ଲୋକଟା ଈଶ୍ବରଙ୍କ ନିକଟରୁ ଆସି ନାହିଁ, କାରଣ ସେ ବିଶ୍ରାମବାର ପାଳନ କରୁ ନାହିଁ। ଆଉ, କେହି କେହି କହିଲେ, ପାପୀ ଲୋକ କିପରି ଏହି ପ୍ରକାର ଆଶ୍ଚର୍ଯ୍ୟକର୍ମସବୁ କରିପାରେ? ଏହିପରି ଭାବେ ସେମାନଙ୍କ ମଧ୍ୟରେ ମତଭେଦ ହେଲା। 17ତେଣୁ ସେମାନେ ଆହୁରି ଥରେ ସେହି ଅନ୍ଧ ଲୋକଟିକୁ ପଚାରିଲେ, ସେ ଯେ ତୋର ଆଖି ଫିଟାଇଲା, ଏଥିରେ ତୁ ତାʼ ବିଷୟରେ କଅଣ କହୁଅଛୁ? ସେ କହିଲା, ସେ ଜଣେ ଭାବବାଦୀ। 18ସେ ଯେ ଅନ୍ଧ ଥିଲା ଆଉ ଦୃଷ୍ଟି ପାଇଅଛି, ସେହି ଦୃଷ୍ଟି ପାଇଥିବା ଲୋକର ପିତାମାତାଙ୍କୁ ଡାକି ନ ପଚାରିବା ପର୍ଯ୍ୟନ୍ତ କେତେକ ଯିହୁଦୀ ନେତାମାନେ ତାହା ସମ୍ବନ୍ଧରେ ଏହା ବିଶ୍ୱାସ କଲେ ନାହିଁ। 19ସେମାନେ ସେମାନଙ୍କୁ ପଚାରିଲେ, ତୁମ୍ଭମାନଙ୍କର ଯେଉଁ ପୁଅ ଅନ୍ଧ ହୋଇ ଜନ୍ମ ହୋଇଥିଲା ବୋଲି କହିଥାଅ, ଏ କଅଣ ତୁମ୍ଭମାନଙ୍କର ସେହି ପୁଅ? ତାହାହେଲେ ସେ କିପରି ଏବେ ଦେଖୁଅଛି? 20ସେଥିରେ ତାହାର ପିତାମାତା ଉତ୍ତର ଦେଲେ, ଏ ଯେ ଆମ୍ଭମାନଙ୍କର ପୁଅ ଓ ଏ ଯେ ଅନ୍ଧ ହୋଇ ଜନ୍ମ ହୋଇଥିଲା, ଏହା ଆମ୍ଭେମାନେ ଜାଣୁ; 21କିନ୍ତୁ ସେ କିପରି ଏବେ ଦେଖୁଅଛି, ତାହା ଜାଣୁ ନାହୁଁ, କିମ୍ବା କିଏ ତାହାର ଆଖି ଫିଟାଇଦେଲେ, ତାହା ମଧ୍ୟ ଆମ୍ଭେମାନେ ଜାଣୁ ନାହୁଁ; ତାହାକୁ ପଚାରନ୍ତୁ, ସେ ତ ବୟସପ୍ରାପ୍ତ, ସେ ଆପଣା କଥା ଆପେ କହିବ। 22ତାହାର ପିତାମାତା ଯିହୁଦୀମାନଙ୍କୁ ଭୟ କରୁଥିବାରୁ ଏହି ସମସ୍ତ କଥା କହିଲେ, କାରଣ ଯଦି କେହି ତାହାଙ୍କୁ ଖ୍ରୀଷ୍ଟ ବୋଲି ସ୍ୱୀକାର କରେ, ତାହାହେଲେ ସେ ସମାଜଗୃହରୁ ବାହାର କରାଯିବ ବୋଲି ସେଥିପୂର୍ବେ ଯିହୁଦୀମାନେ ଏକମତ ହୋଇଥିଲେ। 23ଅତଏବ, ତାହାର ପିତାମାତା କହିଲେ, ସେ ବୟସପ୍ରାପ୍ତ, ତାହାକୁ ପଚାରନ୍ତୁ। 24ସେଥିରେ ପୂର୍ବରେ ଅନ୍ଧ ଥିବା ଲୋକକୁ ସେମାନେ ଦ୍ୱିତୀୟ ଥର ଡାକି କହିଲେ, ଈଶ୍ବରଙ୍କୁ ଗୌରବ ଦିଅ, ସେ ଲୋକଟା ଯେ ପାପୀ, ଏହା ଆମ୍ଭେମାନେ ଜାଣୁ। 25ସେଥିରେ ସେ ଉତ୍ତର ଦେଲା, ସେ ପାପୀ କି ନୁହେଁ, ମୁଁ ତାହା ଜାଣେ ନାହିଁ; ମୁଁ ଗୋଟିଏ ବିଷୟ ଜାଣେ, ମୁଁ ଅନ୍ଧ ଥିଲି, ଏବେ ଦେଖି ପାରୁଅଛି। 26ତେଣୁ ସେମାନେ ତାହାକୁ କହିଲେ, ସେ ତୋତେ କଅଣ କଲା? ସେ କିପ୍ରକାରେ ତୋର ଆଖି ଫିଟାଇଦେଲା? 27ସେ ସେମାନଙ୍କୁ ଉତ୍ତର ଦେଲା, ମୁଁ କହିସାରିଲିଣି, ଆଉ ଆପଣମାନେ ଶୁଣିଲେ ନାହିଁ; କାହିଁକି ଆଉ ଥରେ ଶୁଣିବାକୁ ଇଚ୍ଛା କରୁଅଛନ୍ତି? ଆପଣମାନେ ମଧ୍ୟ କଅଣ ତାହାଙ୍କର ଶିଷ୍ୟ ହେବାକୁ ଇଚ୍ଛା କରୁଅଛନ୍ତି? 28ସେଥିରେ ସେମାନେ ତାହାକୁ ଗାଳି ଦେଇ କହିଲେ, ତୁ ତାହାର ଶିଷ୍ୟ, କିନ୍ତୁ ଆମ୍ଭେମାନେ ମୋଶାଙ୍କର ଶିଷ୍ୟ। 29ଆମ୍ଭେମାନେ ଜାଣୁ ଯେ, ଈଶ୍ବର ମୋଶାଙ୍କୁ କଥା କହିଅଛନ୍ତି, କିନ୍ତୁ ଏ ଲୋକଟା କେଉଁଠାରୁ ଆସିଅଛି, ତାହା ଆମ୍ଭେମାନେ ଜାଣୁ ନାହିଁ। 30ସେହି ଲୋକଟି ସେମାନଙ୍କୁ ଉତ୍ତର ଦେଲା, ସେ ମୋହର ଆଖି ଫିଟାଇଦେଲେ, ଆଉ ସେ କେଉଁଠାରୁ ଆସିଅଛନ୍ତି, ତାହା ଆପଣମାନେ ଜାଣନ୍ତି ନାହିଁ, ଏ ତ ଆଶ୍ଚର୍ଯ୍ୟ କଥା। 31ଈଶ୍ବର ଯେ ପାପୀମାନଙ୍କ କଥା ଶୁଣନ୍ତି ନାହିଁ, ଏହା ଆମ୍ଭେମାନେ ଜାଣୁ, କିନ୍ତୁ ଯଦି କେହି ଈଶ୍ବରଭକ୍ତ ହୋଇ ତାହାଙ୍କର ଇଚ୍ଛା ସାଧନ କରେ, ତାହାହେଲେ ସେ ତାହାର କଥା ଶୁଣନ୍ତି। 32କେହି ଯେ ଜନ୍ମାନ୍ଧର ଚକ୍ଷୁ ଫିଟାଇଦେଲା, ଏହା ତ କଦାପି ଶୁଣାଯାଇ ନ ଥିଲା। 33ଏ ଈଶ୍ବରଙ୍କଠାରୁ ଆସି ନ ଥିଲେ କିଛି କରିପାରନ୍ତେ ନାହିଁ। 34ସେମାନେ ତାହାକୁ ଉତ୍ତର ଦେଲେ, ତୁ ତ ପୁରା ପାପରେ ଜନ୍ମ ହେଲୁ, ଆଉ ତୁ ଆମ୍ଭମାନଙ୍କୁ ଶିକ୍ଷା ଦେଉଅଛୁ? ସେଥିରେ ସେମାନେ ତାହାକୁ ବାହାର କରିଦେଲେ। 35ସେମାନେ ଯେ ତାହାକୁ ବାହାର କରିଦେଇଅଛନ୍ତି, ଯୀଶୁ ଏହା ଶୁଣି ତାହାର ଦେଖା ପାଇ କହିଲେ, “ତୁମ୍ଭେ କଅଣ ମନୁଷ୍ୟପୁତ୍ରଙ୍କଠାରେ ବିଶ୍ୱାସ କରୁଅଛ?” 36ସେ ଉତ୍ତର ଦେଲା, ହେ ପ୍ରଭୁ, ସେ କିଏ କହନ୍ତୁ, ଯେପରି ମୁଁ ତାହାଙ୍କଠାରେ ବିଶ୍ୱାସ କରିବି? 37ଯୀଶୁ ତାହାକୁ କହିଲେ, “ତୁମ୍ଭେ ତାହାଙ୍କୁ ଦେଖିଅଛ, ଆଉ ଯେ ତୁମ୍ଭ ସାଙ୍ଗରେ କଥା କହୁଅଛନ୍ତି, ସେ ସେହି।” 38ସେଥିରେ ସେ କହିଲା, ପ୍ରଭୁ ମୁଁ ବିଶ୍ୱାସ କରୁଅଛି; ଆଉ, ସେ ତାହାଙ୍କୁ ପ୍ରଣାମ କଲା।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମଇ 24 ନାଗରିକ ପଞ୍ଜିକାର ଜୁନ 6। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର