ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 7
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 7 ଜୁନ 2027
ସୋମବାର · ସାଧାରଣ କାଳର ଦଶମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର ଦଶମ ସପ୍ତାହର ସୋମବାର
ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ
ଦିନର ପାଠ
ପ୍ରଥମ ପାଠ
1ପାଉଲ, ଈଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ, ଆଉ ଭ୍ରାତା ତୀମଥି, କରିନ୍ଥ ସହରରେ ଥିବା ଈଶ୍ବରଙ୍କ ମଣ୍ଡଳୀ, ପୁଣି, ସମୁଦାୟ ଆଖାୟାରେ ଥିବା ସମସ୍ତ ସାଧୁଙ୍କ ନିକଟକୁ ପତ୍ର; 2ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। 3ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଈଶ୍ବର ଓ ପିତା ଧନ୍ୟ, ସେ ଦୟାମୟ ପିତା ଓ ସମସ୍ତ ସାନ୍ତ୍ୱନାଦାତା ଈଶ୍ବର; 4ଈଶ୍ବରଙ୍କ ଦ୍ୱାରା ଯେଉଁ ସାନ୍ତ୍ୱନାରେ ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଉଅଛୁ, ସେହି ସାନ୍ତ୍ୱନା ଦ୍ୱାରା ଯେପରି ସମସ୍ତ ପ୍ରକାର କ୍ଳେଶ ଭୋଗୁଥିବା ଲୋକମାନଙ୍କୁ ସାନ୍ତ୍ୱନା ଦେଇପାରୁ, ଏଥିପାଇଁ ସେ ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ଆମ୍ଭମାନଙ୍କୁ ସାନ୍ତ୍ୱନା ପ୍ରଦାନ କରନ୍ତି। 5କାରଣ ଖ୍ରୀଷ୍ଟଙ୍କ ସକାଶେ ଆମ୍ଭମାନଙ୍କ ଦୁଃଖଭୋଗ ଯେପରି ପ୍ରଚୁର, ସେହିପରି ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କର ସାନ୍ତ୍ୱନା ମଧ୍ୟ ପ୍ରଚୁର। 6କିନ୍ତୁ ଆମ୍ଭେମାନେ ଦୁଃଖଭୋଗ କଲେ ତାହା ତୁମ୍ଭମାନଙ୍କର ସାନ୍ତ୍ୱନା ଓ ପରିତ୍ରାଣ ନିମନ୍ତେ; କିମ୍ବା ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଲେ ତାହା ତୁମ୍ଭମାନଙ୍କର ସାନ୍ତ୍ୱନା ନିମନ୍ତେ; ଆମ୍ଭେମାନେ ଯେଉଁ ପ୍ରକାର ଦୁଃଖଭୋଗ କରୁ, ସେହି ପ୍ରକାର ଦୁଃଖଭୋଗ ଧୈର୍ଯ୍ୟ ସହିତ ସହ୍ୟ କରିବାରେ ସେହି ସାନ୍ତ୍ୱନା କାର୍ଯ୍ୟ ସାଧନ କରୁଅଛି। 7ଆଉ, ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଭରସା ଅଟଳ, ଯେଣୁ ତୁମ୍ଭେମାନେ ଯେପରି ଦୁଃଖଭୋଗର ସହଭାଗୀ, ସେହିପରି ମଧ୍ୟ ସାନ୍ତ୍ୱନାର ଯେ ସହଭାଗୀ ଅଟ, ଏହା ଆମ୍ଭେମାନେ ଜାଣୁ।
ପ୍ରତିଉତ୍ତର ଗୀତ
1ଦାଉଦଙ୍କ ଗୀତ; ଯେତେବେଳେ ସେ ଅବୀମେଲକ୍ ସାକ୍ଷାତରେ ଆପଣା ମତି ବଦଳାଇବାରୁ ତାହା ଦ୍ୱାରା ତାଡ଼ିତ ହୋଇ ପ୍ରସ୍ଥାନ କରିଥିଲେ, ସେହି ସମୟର ଗୀତ। ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋʼ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ। 2ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ। 3ଆହେ, ମୋʼ ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ କର, ଆସ, ଆମ୍ଭେମାନେ ଏକ ସଙ୍ଗେ ତାହାଙ୍କ ନାମର ପ୍ରତିଷ୍ଠା କରୁ। 4ମୁଁ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି, ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ। 5ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ ହେଲେ; ଆଉ, ସେମାନଙ୍କ ମୁଖ କେବେ ହେଁ ବିବର୍ଣ୍ଣ ନୋହିବ। 6ଏହି ଦୁଃଖୀଲୋକ କାକୂକ୍ତି କଲା, ପୁଣି, ସଦାପ୍ରଭୁ ତାହାର କଥା ଶୁଣିଲେ ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ। 7ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି। 8ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ।
ସୁସମାଚାର
1ଲୋକମାନଙ୍କୁ ଦେଖି ଯୀଶୁ ପାହାଡ ଉପରକୁ ଚଢ଼ିଲେ, ପୁଣି, ବସିବା ପରେ ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସିଲେ। 2ସେଥିରେ ସେ ମୁଖ ଫିଟାଇ ସେମାନଙ୍କୁ ଶିକ୍ଷା ଦେଇ କହିବାକୁ ଲାଗିଲେ, 3“ଆତ୍ମାରେ ଦୀନହୀନ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର। 4ଶୋକାର୍ତ୍ତ ଲୋକେ ଧନ୍ୟ, କାରଣ ସେମାନେ ସାନ୍ତ୍ୱନାପ୍ରାପ୍ତ ହେବେ। 5ନମ୍ର ଲୋକେ ଧନ୍ୟ, କାରଣ ସେମାନେ ପୃଥିବୀର ଅଧିକାରୀ ହେବେ। 6ଧାର୍ମିକତା ନିମନ୍ତେ କ୍ଷୁଧିତ ଓ ତୃଷିତ ଲୋକେ ଧନ୍ୟ, କାରଣ ସେମାନେ ପରିତୃପ୍ତ ହେବେ। 7ଦୟାଳୁ ଲୋକେ ଧନ୍ୟ, କାରଣ ସେମାନେ ଦୟା ପ୍ରାପ୍ତ ହେବେ। 8ଶୁଦ୍ଧଚିତ୍ତ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ବରଙ୍କ ଦର୍ଶନ ପାଇବେ। 9ଶାନ୍ତିକାରକ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ବରଙ୍କ ସନ୍ତାନ ଭାବରେ ପରିଚିତ ହେବେ। 10ଧାର୍ମିକତା ନିମନ୍ତେ ତାଡ଼ନାପ୍ରାପ୍ତ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର। 11ଲୋକେ ଯେବେ ତୁମ୍ଭମାନଙ୍କୁ ମୋʼ ସକାଶେ ନିନ୍ଦା ଓ ତାଡ଼ନା କରନ୍ତି, ପୁଣି, ମିଥ୍ୟାରେ ତୁମ୍ଭମାନଙ୍କ ବିରୁଦ୍ଧରେ ସମସ୍ତ ପ୍ରକାର ମନ୍ଦ କଥା କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ। 12ଆନନ୍ଦ କର ଓ ଉଲ୍ଲସିତ ହୁଅ, କାରଣ ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ସେହିପରି ତ ସେମାନେ ତୁମ୍ଭମାନଙ୍କ ପୂର୍ବରୁ ଆସିଥିବା ଭାବବାଦୀମାନଙ୍କୁ ତାଡ଼ନା କରିଥିଲେ।
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର