ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 9
ଅର୍ଥୋଡକ୍ସ ପଞ୍ଜିକା · 27 ମଇ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 9 ଜୁନ 2027
ବୁଧବାର · ପାସ୍କାର ଷଷ୍ଠ ସପ୍ତାହ · ସ୍ୱର 5
ପର୍ବ ଓ ସନ୍ଥ
ପାସ୍କାର ସମାପନ; ସ୍ୱର୍ଗାରୋହଣର ପୂର୍ବପର୍ବ
ଉପବାସ ଦିନ
ମାଛ ଚଳିବ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
22କାଇସରିୟାରେ ପହଞ୍ଚି ସେ ଜାହାଜରୁ ଓହ୍ଲାଇଲେ, ଆଉ ଯାଇ ମଣ୍ଡଳୀକୁ ନମସ୍କାର କରି ଆନ୍ତିୟଖିଆକୁ ଚାଲିଗଲେ। 23ସେ ସ୍ଥାନରେ କେତେକ ସମୟ ରହିଲା ପରେ ସେ ପ୍ରସ୍ଥାନ କଲେ, ପୁଣି, କ୍ରମାନ୍ୱୟେ ଗାଲାତୀୟ ଓ ଫ୍ରୁଗିଆ ଅଞ୍ଚଳଗୁଡ଼ିକ ଦେଇ ଯାତ୍ରା କରୁ କରୁ ଶିଷ୍ୟ ସମସ୍ତଙ୍କୁ ସୁସ୍ଥିର କରୁଥିଲେ। 24ଇତିମଧ୍ୟରେ ଆପଲ୍ଲ ନାମକ ଜଣେ ଯିହୁଦୀ ଏଫିସକୁ ଆସିଲେ, ତାହାଙ୍କର ଜନ୍ମସ୍ଥାନ ଆଲେକଜାଣ୍ଡ୍ରୀୟ ସହରରେ ଥିଲା; ସେ ସୁବକ୍ତା ଓ ଧର୍ମଶାସ୍ତ୍ରରେ ଶକ୍ତିଶାଳୀ ଥିଲେ। 25ଏହି ବ୍ୟକ୍ତି ପ୍ରଭୁଙ୍କ ମାର୍ଗ ବିଷୟରେ ଶିକ୍ଷା ପ୍ରାପ୍ତ ହୋଇଥିଲେ, ପୁଣି, ଆତ୍ମାରେ ଉତ୍ତପ୍ତ ହୋଇ ଯୀଶୁଙ୍କ ବିଷୟ ସୂକ୍ଷ୍ମରୂପେ କହି ଶିକ୍ଷା ଦେଉଥିଲେ, କିନ୍ତୁ ସେ କେବଳ ଯୋହନଙ୍କ ବାପ୍ତିସ୍ମ ବିଷୟ ଜାଣିଥିଲେ; 26ସେ ସମାଜଗୃହରେ ସାହସ ସହିତ କଥା କହିବାକୁ ଲାଗିଲେ। କିନ୍ତୁ ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାହାଙ୍କ କଥା ଶୁଣି ତାହାଙ୍କୁ ଆପଣାମାନଙ୍କ ସାଙ୍ଗରେ ରଖି ଅଧିକ ସୂକ୍ଷ୍ମ ରୂପେ ଈଶ୍ବରଙ୍କ ମାର୍ଗ ବିଷୟ ତାହାଙ୍କୁ ବୁଝାଇଦେଲେ। 27ସେ ଆଖାୟା ଦେଶକୁ ଯିବା ପାଇଁ ଇଚ୍ଛା କରିବାରୁ ଭାଇମାନେ ତାହାଙ୍କୁ ଉତ୍ସାହ ଦେଇ ତାହାଙ୍କୁ ଗ୍ରହଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଲେଖିଲେ। ସେ ସେଠାରେ ଉପସ୍ଥିତ ହୋଇ, ଯେଉଁମାନେ ବିଶ୍ୱାସ କରିଥିଲେ, ଈଶ୍ବରଙ୍କ ଅନୁଗ୍ରହ ଦ୍ୱାରା ସେମାନଙ୍କର ବହୁତ ଉପକାର କଲେ, 28କାରଣ ଯୀଶୁ ଯେ ଖ୍ରୀଷ୍ଟ, ଏହା ଧର୍ମଶାସ୍ତ୍ର ଦ୍ୱାରା ପ୍ରମାଣ କରି ସେ ପ୍ରକାଶରେ ଶକ୍ତି ସହିତ ଯିହୁଦୀମାନଙ୍କର ଯୁକ୍ତିସବୁ ଖଣ୍ଡନ କରିବାକୁ ଲାଗିଲେ।
ସୁସମାଚାର
36ତୁମ୍ଭେମାନେ ଯେପରି ଜ୍ୟୋତିଃର ସନ୍ତାନ ହୁଅ, ସେଥିପାଇଁ ଜ୍ୟୋତିଃ ତୁମ୍ଭମାନଙ୍କ ନିକଟରେ ଥାଉ ଥାଉ ଜ୍ୟୋତିଃରେ ବିଶ୍ୱାସ କର।” ଯୀଶୁ ଏହିସବୁ କଥା କହି ପ୍ରସ୍ଥାନ କଲେ ଓ ସେମାନଙ୍କଠାରୁ ଗୋପନରେ ରହିଲେ। 37କିନ୍ତୁ ଯଦ୍ୟପି ସେ ସେମାନଙ୍କ ସାକ୍ଷାତରେ ଏତେ ଆଶ୍ଚର୍ଯ୍ୟକର୍ମ କରିଥିଲେ, ତଥାପି ସେମାନେ ତାହାଙ୍କଠାରେ ବିଶ୍ୱାସ କରୁ ନ ଥିଲେ, 38ଯେପରି ଭାବବାଦୀ ଯିଶାଇୟଙ୍କ ଦ୍ୱାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, “ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି? ଆଉ ପ୍ରଭୁଙ୍କ ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି?” 39ଏହି କାରଣରୁ ସେମାନେ ବିଶ୍ୱାସ କରିପାରୁ ନ ଥିଲେ, ଯେଣୁ ଯିଶାଇୟ ପୁନଶ୍ଚ କହିଅଛନ୍ତି, 40“ସେ ସେମାନଙ୍କର ଚକ୍ଷୁ ଅନ୍ଧ କରିଅଛନ୍ତି, ଆଉ ସେମାନଙ୍କ ହୃଦୟ ଜଡ଼ କରିଅଛନ୍ତି, ଯେପରି ସେମାନେ ଆଖିରେ ଦେଖିବେ ନାହିଁ ଓ ହୃଦୟରେ ବୁଝିବେ ନାହିଁ, ପୁଣି, ଫେରିବେ ନାହିଁ, ଆଉ ଆମ୍ଭେ ସେମାନଙ୍କୁ ସୁସ୍ଥ କରିବୁ ନାହିଁ।” 41ଯିଶାଇୟ ଏହିସବୁ କହିଲେ, କାରଣ ସେ ତାହାଙ୍କର ମହିମା ଦେଖିଲେ ଓ ତାହାଙ୍କ ବିଷୟରେ କଥା କହିଲେ। 42ତଥାପି ଯିହୁଦୀ ନେତାମାନଙ୍କ ମଧ୍ୟରୁ ସୁଦ୍ଧା ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ, କିନ୍ତୁ କାଳେ ସେମାନେ ସମାଜଗୃହରୁ ବାହାର ହୁଅନ୍ତି, ଏଥିପାଇଁ ଫାରୂଶୀମାନଙ୍କ ହେତୁ ତାହା ସ୍ୱୀକାର କରୁ ନ ଥିଲେ, 43କାରଣ ସେମାନେ ଈଶ୍ବରଙ୍କଠାରୁ ଗୌରବ ଅପେକ୍ଷା ବରଂ ମନୁଷ୍ୟମାନଙ୍କଠାରୁ ଗୌରବ ଭଲ ପାଇଲେ। 44ଯୀଶୁ ଉଚ୍ଚସ୍ୱରରେ କହିଲେ, “ଯେ ମୋʼ ଠାରେ ବିଶ୍ୱାସ କରେ, ସେ କେବଳ ମୋʼ ଠାରେ ବିଶ୍ୱାସ କରେ ନାହିଁ, ମାତ୍ର ମୋହର ପ୍ରେରଣକର୍ତ୍ତାଙ୍କଠାରେ ବିଶ୍ୱାସ କରେ; 45ଆଉ, ଯେ ମୋତେ ଦର୍ଶନ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଦର୍ଶନ କରେ। 46ଯେ କେହି ମୋʼ ଠାରେ ବିଶ୍ୱାସ କରେ, ସେ ଯେପରି ଅନ୍ଧକାରରେ ବାସ ନ କରେ, ଏଥିପାଇଁ ମୁଁ ଜଗତକୁ ଜ୍ୟୋତିଃ ହୋଇ ଆସିଅଛି। 47କେହି ଯଦି ମୋହର ବାକ୍ୟ ଶୁଣି ପାଳନ କରେ ନାହିଁ, ତାହାହେଲେ ମୁଁ ତାହାର ବିଚାର କରେ ନାହିଁ; କାରଣ ମୁଁ ଜଗତର ବିଚାର କରିବାକୁ ନ ଆସି ବରଂ ଜଗତକୁ ପରିତ୍ରାଣ କରିବାକୁ ଆସିଅଛି।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ମଇ 27 ନାଗରିକ ପଞ୍ଜିକାର ଜୁନ 9। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର