Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 12

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 12 ଜୁନ 2027

ଶନିବାର · ସାଧାରଣ କାଳର ଦଶମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର ଦଶମ ସପ୍ତାହର ଶନିବାର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ

ଶନିବାରରେ ଧନ୍ୟା କୁମାରୀ ମରୀୟମଙ୍କ ସ୍ମୃତି ଦିବସ · ଇଚ୍ଛାଧୀନ ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ଦ୍ଵି.କରି 5:14–21

14କାରଣ ଖ୍ରୀଷ୍ଟଙ୍କ ପ୍ରେମ ଆମ୍ଭମାନଙ୍କୁ ବଶରେ ରଖି ଚଳାଉଅଛି, ଯେଣୁ ଆମ୍ଭେମାନେ ଏହି ବିଚାର କରିଅଛୁ ଯେ, ଜଣେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କରିଥିବାରୁ ସମସ୍ତେ ମୃତ ହେଲେ; 15ଆଉ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଯେଉଁମାନେ ଜୀବିତ, ସେମାନେ ଆଉ ଆପଣା ଆପଣା ନିମନ୍ତେ ଜୀବନଯାପନ ନ କରି ବରଂ ଯେ ସେମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ଓ ଉତ୍ଥିତ ହେଲେ, ତାହାଙ୍କ ନିମନ୍ତେ ଜୀବନଯାପନ କରନ୍ତି। 16ଅତଏବ ଆଜିଠାରୁ ଆମ୍ଭେମାନେ ଶରୀର ଅନୁସାରେ କାହାରିକୁ ଜାଣୁ ନାହୁଁ; ଯଦ୍ୟପି ଖ୍ରୀଷ୍ଟଙ୍କୁ ଶରୀର ଅନୁସାରେ ଆମ୍ଭେମାନେ ଜାଣିଅଛୁ, ତଥାପି ଏବେ ଆଉ ତାହାଙ୍କୁ ସେହି ପ୍ରକାରେ ଜାଣୁ ନାହୁଁ। 17ଏଣୁ ଯଦି କେହି ଖ୍ରୀଷ୍ଟଙ୍କଠାରେ ଅଛି, ତେବେ ସେ ନୂତନ ସୃଷ୍ଟି ହୋଇଅଛି ପୁରାତନ ବିଷୟସବୁ ଲୋପ ପାଇଅଛି, ଦେଖ, ନୂତନ ବିଷୟସବୁ ହୋଇଅଛି। 18କିନ୍ତୁ ସମସ୍ତ ବିଷୟ ଈଶ୍ବରଙ୍କଠାରୁ ହୋଇଅଛି; ସେ ଖ୍ରୀଷ୍ଟଙ୍କ ଦ୍ୱାରା ଆପଣା ସହିତ ଆମ୍ଭମାନଙ୍କୁ ସମ୍ମିଳିତ କରିଅଛନ୍ତି ଓ ସେହି ସମ୍ମିଳନର ସେବକପଦ ଆମ୍ଭମାନଙ୍କୁ ଦେଇଅଛନ୍ତି; 19ସେହି ସମ୍ମିଳନର ବାକ୍ୟ ଏହି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ଜଗତକୁ ଆପଣା ସହିତ ସମ୍ମିଳିତ କରୁଥିଲେ; ସେ ଜଗତବାସୀଙ୍କର ଅପରାଧ ଗଣନା ନ କରି ସେହି ସମ୍ମିଳନର ବାକ୍ୟ ଆମ୍ଭମାନଙ୍କ ନିକଟରେ ସମର୍ପଣ କରିଅଛନ୍ତି। 20ଅତଏବ, ଈଶ୍ବର ଆମ୍ଭମାନଙ୍କ ଦ୍ୱାରା ଆହ୍ୱାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଈଶ୍ବରଙ୍କ ସହିତ ସମ୍ମିଳିତ ହୁଅ। 21ଯାହାଙ୍କଠାରେ ପାପର ଲେଶମାତ୍ର ନ ଥିଲା, ତାହାଙ୍କୁ ସେ ଆମ୍ଭମାନଙ୍କ ନିମନ୍ତେ ପାପ ସ୍ୱରୂପ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଈଶ୍ବରଙ୍କର ଧାର୍ମିକତାସ୍ୱରୂପ ହେଉ।

ପ୍ରତିଉତ୍ତର ଗୀତ

ଗୀତ 103:1–4, 8–9, 11–12

1ଦାଉଦଙ୍କର ଗୀତ। ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ମୋହର ଅନ୍ତରସ୍ଥ ସମସ୍ତ, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର। 2ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର ଓ ତାହାଙ୍କର ମଙ୍ଗଳଦାନସବୁ ପାସୋର ନାହିଁ; 3ସେ ତୁମ୍ଭର ଅଧର୍ମସବୁ କ୍ଷମା କରନ୍ତି; ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି; 4ସେ ବିନାଶରୁ ତୁମ୍ଭ ଜୀବନ ମୁକ୍ତ କରନ୍ତି; ସେ ସ୍ନେହପୂର୍ଣ୍ଣ କରୁଣା ଓ ଦୟାରୂପ ମୁକୁଟରେ ତୁମ୍ଭକୁ ଭୂଷିତ କରନ୍ତି; 8ସଦାପ୍ରଭୁ ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର ଓ ଅତ୍ୟନ୍ତ ଦୟାଳୁ। 9ସେ ନିରନ୍ତର ଧମକାଇବେ ନାହିଁ; କିଅବା ସଦାକାଳ ଆପଣା କ୍ରୋଧ ରଖିବେ ନାହିଁ। 11କାରଣ ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ, ସେପରି ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ମହତ। 12ପୂର୍ବରୁ ପଶ୍ଚିମ ଯେତେ ଦୂର, ସେ ଆମ୍ଭମାନଙ୍କଠାରୁ ଆମ୍ଭମାନଙ୍କ ଅପରାଧ ସେତେ ଦୂର କରିଅଛନ୍ତି।

ସୁସମାଚାର

ମାଥି 5:33–37

33ପୁଣି, ତୁମ୍ଭେମାନେ ଶୁଣିଅଛ ଯେ, ପୁରାତନ କାଳର ଲୋକମାନଙ୍କୁ କୁହାଯାଇଥିଲା, ‘ତୁମ୍ଭେ ମିଥ୍ୟା ଶପଥ କର ନାହିଁ ମାତ୍ର ଆପଣା ଶପଥସବୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପାଳନ କରିବ।’ 34କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଦୌ ଶପଥ କର ନାହିଁ; ସ୍ୱର୍ଗର ଶପଥ କର ନାହିଁ, କାରଣ ତାହା ଈଶ୍ବରଙ୍କ ସିଂହାସନ; 35କିମ୍ବା ପୃଥିବୀର ଶପଥ କର ନାହିଁ, କାରଣ ତାହା ତାହାଙ୍କର ପାଦପୀଠ; ଯିରୂଶାଲମ ସହରର ଶପଥ କର ନାହିଁ, କାରଣ ତାହା ମହାରାଜାଙ୍କ ନଗରୀ; 36ଆପଣା ମସ୍ତକର ଶପଥ କର ନାହିଁ, କାରଣ ତାହାର ଗୋଟିଏ କେଶ ଧଳା ବା କଳା କରିବାକୁ ତୁମ୍ଭର ଶକ୍ତି ନାହିଁ। 37କିନ୍ତୁ ତୁମ୍ଭମାନଙ୍କ ହଁ କଥା ‘ହଁ’ ହେଉ, ନା କଥା ‘ନା’ ହେଉ; ଏଥିରୁ ଯାହା ଅଧିକ, ତାହା ମନ୍ଦରୁ ଜନ୍ମେ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର