ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 19
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 19 ଜୁନ 2027
ଶନିବାର · ସାଧାରଣ କାଳର 11ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 11ତମ ସପ୍ତାହର ଶନିବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ
ସନ୍ଥ ରୋମୁଆଲ୍ଡ, ମଠାଧ୍ୟକ୍ଷ · ଇଚ୍ଛାଧୀନ ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
1ଯଦ୍ୟପି ଦର୍ପ କରିବା ହିତକର ନୁହେଁ, ତଥାପି ମୋତେ ଦର୍ପ କରିବାକୁ ପଡ଼ୁଅଛି; ମୁଁ ପ୍ରଭୁଙ୍କ ଦର୍ଶନ ଓ ପ୍ରକାଶିତ ବିଷୟ କହିବି। 2ମୁଁ ଖ୍ରୀଷ୍ଟାଶ୍ରିତ ଜଣେ ଲୋକକୁ ଜାଣେ, ସେ ଚଉଦ ବର୍ଷ ପୂର୍ବେ ତୃତୀୟ ସ୍ୱର୍ଗ ପର୍ଯ୍ୟନ୍ତ ନୀତ ହେଲା, (ସେ ଶରୀରରେ ଥିଲା କି ଶରୀରର ବାହାରେ ଥିଲା, ମୁଁ ଜାଣେ ନାହିଁ; ଈଶ୍ବର ଜାଣନ୍ତି)। 3ହଁ, ମୁଁ ଏହିପରି ଜଣେ ଲୋକକୁ ଜାଣେ, ସେ ପାରଦୀଶକୁ ନୀତ ହେଲା (ସେ ଶରୀରରେ ଥିଲା କି ଶରୀରର ବାହାରେ ଥିଲା, ମୁଁ ଜାଣେ ନାହିଁ; ଈଶ୍ବର ଜାଣନ୍ତି)। 4ଆଉ ଯାହା ମନୁଷ୍ୟ ପକ୍ଷରେ କହିବା ବିଧେୟ ନୁହେଁ, ଏପରି ଅକଥନୀୟ ବାକ୍ୟ ଶ୍ରବଣ କଲା। 5ଏହିପରି ଜଣକ ବିଷୟରେ ମୁଁ ଦର୍ପ କରିବି, କିନ୍ତୁ ମୋʼ ନିଜ ବିଷୟରେ ମୋହର ଦୁର୍ବଳତା ବିନା ଆଉ କାହିଁରେ ଦର୍ପ କରିବି ନାହିଁ। 6ଆଉ ଦର୍ପ କରିବାକୁ ଇଚ୍ଛା କଲେ ହେଁ ମୁଁ ନିର୍ବୋଧ ହେବି ନାହିଁ, ଯେଣୁ ମୁଁ ସତ୍ୟ କହିବି କିନ୍ତୁ କାଳେ କୌଣସି ଲୋକ ମୋତେ ଯେପ୍ରକାର ଦେଖେ କିମ୍ବା ମୋʼଠାରୁ ଯେପ୍ରକାର ଶୁଣେ, ମୋʼ ପ୍ରତି ପ୍ରକାଶିତ ବିଷୟରେ ଅତ୍ୟଧିକ ଶ୍ରେଷ୍ଠତା ହେତୁ ଯେପରି ମୋʼ ବିଷୟରେ ଅଧିକ ବୋଧ ନ କରେ, ଏଥିପାଇଁ ମୁଁ କ୍ଷାନ୍ତ ହୋଇଥାଏ। 7ଏଣୁ ମୁଁ ଯେପରି ଅତିଶୟ ଗର୍ବୀ ନ ହୁଏ, ଏଥିନିମନ୍ତେ ମୋହର ଶରୀରରେ ଗୋଟିଏ କଣ୍ଟକ ଦିଆଗଲା, ମୋତେ ପ୍ରହାର କରିବା ପାଇଁ ଶୟତାନର ଦୂତକୁ ପଠାଗଲା, ଯେପରି ମୁଁ ଅତିଶୟ ଗର୍ବୀ ନ ହୁଏ। 8ଯେପରି ତାହା ମୋʼଠାରୁ ଦୂର ହୁଏ, ଏଥିପାଇଁ ମୁଁ ପ୍ରଭୁଙ୍କୁ ସେ ବିଷୟରେ ତିନି ଥର ବିନତି କଲି। 9ଆଉ, ସେ ମୋତେ କହିଅଛନ୍ତି, “ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ।” ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି। 10ତେଣୁ ଖ୍ରୀଷ୍ଟଙ୍କ ନିମନ୍ତେ ଦୁର୍ବଳତାରେ, ଅପମାନରେ, ଦୁର୍ଦ୍ଦଶାରେ, ତାଡ଼ନାରେ, ସଙ୍କଟରେ ମୁଁ ସନ୍ତୁଷ୍ଟ ହୁଏ; କାରଣ ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ବଳବାନ।
ପ୍ରତିଉତ୍ତର ଗୀତ
7ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି। 8ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ। 9ହେ ତାହାଙ୍କର ସଦ୍ଭକ୍ତମାନେ, ସଦାପ୍ରଭୁଙ୍କୁ ଭୟ କର; କାରଣ ଯେଉଁମାନେ ତାହାଙ୍କୁ ଭୟ କରନ୍ତି, ସେମାନଙ୍କର କୌଣସି ଅଭାବ ନାହିଁ। 10ଯୁବା ସିଂହମାନଙ୍କର ଅଭାବ ଓ କ୍ଷୁଧାରୁ କ୍ଳେଶ ହୁଏ; ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କର କୌଣସି ମଙ୍ଗଳ ବିଷୟ ଅଭାବ ନୋହିବ। 11ହେ ବାଳକମାନେ, ଆସ, ମୋʼ କଥା ଶୁଣ; ମୁଁ ତୁମ୍ଭମାନଙ୍କୁ ସଦାପ୍ରଭୁଙ୍କ ଭୟ ଶିଖାଇବି। 12ଯେ ଜୀବନ ବାଞ୍ଛା କରେ ଓ ମଙ୍ଗଳ ଦେଖିବା ପାଇଁ ଦୀର୍ଘାୟୁ ପ୍ରିୟ ମଣେ ଏପରି ବ୍ୟକ୍ତି କିଏ?
ସୁସମାଚାର
24କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାର ନାହିଁ। 25ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଜୀବନ ନିମନ୍ତେ କଅଣ ଖାଇବ ବା କଅଣ ପିଇବ, କିଅବା କଅଣ ପିନ୍ଧିବ, ଏଭଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ। ଖାଦ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର କି ଶ୍ରେଷ୍ଠ ନୁହେଁ? 26ଆକାଶର ପକ୍ଷୀମାନଙ୍କୁ ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ କିଅବା ଅମାରରେ ସଞ୍ଚୟ କରନ୍ତି ନାହିଁ, ଆଉ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ସେମାନଙ୍କୁ ଖାଦ୍ୟ ଦିଅନ୍ତି। ତୁମ୍ଭେମାନେ କଅଣ ସେମାନଙ୍କଠାରୁ ଶ୍ରେଷ୍ଠ ନୁହଁ? 27ପୁଣି, ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁଷର ଗୋଟିଏ ମୁହୂର୍ତ୍ତ ମଧ୍ୟ ବୃଦ୍ଧି କରିପାରେ? 28ଆଉ ବସ୍ତ୍ର ନିମନ୍ତେ କାହିଁକି ଚିନ୍ତା କରୁଅଛ? କ୍ଷେତ୍ରର ପୁଷ୍ପଗୁଡ଼ିକ ବିଷୟରେ ଭାବି ଶିକ୍ଷା ଗ୍ରହଣ କର, ସେଗୁଡ଼ିକ କିପରି ବଢ଼ନ୍ତି; ସେ ସବୁ ପରିଶ୍ରମ କରନ୍ତି ନାହିଁ, କିମ୍ବା ସୂତା କାଟନ୍ତି ନାହିଁ, 29ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ଶଲୋମନ ସୁଦ୍ଧା ଆପଣାର ସମସ୍ତ ଐଶ୍ୱର୍ଯ୍ୟରେ ଏଗୁଡ଼ିକ ମଧ୍ୟରୁ ଗୋଟିକ ପରି ବିଭୂଷିତ ନ ଥିଲେ। 30କିନ୍ତୁ କ୍ଷେତର ଯେଉଁ ଘାସ ଆଜି ଅଛି, ଆଉ କାଲି ଚୁଲିରେ ପକାଯାଏ, ତାହାକୁ ଯେବେ ଈଶ୍ବର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ୱାସୀମାନେ, ସେ ତୁମ୍ଭମାନଙ୍କୁ କି ଅଧିକ ନିଶ୍ଚିତରୂପେ ବସ୍ତ୍ର ନ ଦେବେ? 31ଏଣୁ କଅଣ ଖାଇବା? ଅବା କଅଣ ପିଇବା? କିଅବା କଅଣ ପିନ୍ଧିବା? ଏହା କହି ଚିନ୍ତିତ ହୁଅ ନାହିଁ। 32କାରଣ ଅଣଯିହୁଦୀମାନେ ଏହିସବୁ ବିଷୟ ଖୋଜି ବୁଲନ୍ତି। ଆଉ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ଜାଣନ୍ତି। 33କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ। 34ଅତଏବ କାଲି ପାଇଁ ଚିନ୍ତିତ ହୁଅ ନାହିଁ, କାରଣ କାଲି ନିଜେ ନିଜ ପାଇଁ ଚିନ୍ତା କରିବ। ଆଜିର କଷ୍ଟ ଆଜି ପାଇଁ ଯଥେଷ୍ଟ।
ଆଜିର ସନ୍ଥ
- ସନ୍ଥ ରୋମୁଆଲ୍ଡ, ମଠାଧ୍ୟକ୍ଷ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର