Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 28

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 28 ଜୁନ 2027

ସୋମବାର · ସାଧାରଣ କାଳର 13ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 13ତମ ସପ୍ତାହର ସୋମବାର

ସ୍ମୃତି ଦିବସ · ଉପାସନାର ରଙ୍ଗ: ନାଲି

ସନ୍ଥ ଇରେନିୟସ୍, ଧର୍ମାଧ୍ୟକ୍ଷ, ଶହୀଦ ଓ ମଣ୍ଡଳୀର ଆଚାର୍ଯ୍ୟ · ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ଆଦି 18:16–33

16ଏଥିଉତ୍ତାରେ ସେହି ଲୋକମାନେ ସେଠାରୁ ଉଠି ସଦୋମ ଆଡ଼କୁ ପ୍ରସ୍ଥାନ କରନ୍ତେ, ଅବ୍ରହାମ ବାଟ ଦେଖାଇବାକୁ ସେମାନଙ୍କ ସଙ୍ଗେ ସଙ୍ଗେ ଚାଲିଲେ। 17ତହୁଁ ସଦାପ୍ରଭୁ କହିଲେ, “ଆମ୍ଭେ ଯାହା କରିବାକୁ ଉଦ୍ୟତ ଅଟୁ, ତାହା କି ଅବ୍ରହାମଠାରୁ ଲୁଚାଇବା? 18ଅବ୍ରହାମଠାରୁ ଏକ ମହତୀ ଓ ବଳବତୀ ଗୋଷ୍ଠୀ ଉତ୍ପନ୍ନ ହେବ ଓ ପୃଥିବୀର ଯାବତୀୟ ଗୋଷ୍ଠୀ ତାହାଠାରୁ ଆଶୀର୍ବାଦ ପ୍ରାପ୍ତ ହେବେ। 19ଯେହେତୁ ତାହାର ଭବିଷ୍ୟତ ସନ୍ତାନଗଣ ଓ ପରିବାରବର୍ଗ ଯେପରି ନ୍ୟାୟ ଓ ଧର୍ମାଚରଣ କରିବାକୁ ସଦାପ୍ରଭୁଙ୍କ ପଥରେ ଚାଲିବେ, ଏଥିପାଇଁ ସେମାନଙ୍କୁ ସେ ଯେପରି ଆଜ୍ଞା ଦେବ, ଏହି ଅଭିପ୍ରାୟରେ ଆମ୍ଭେ ତାହାକୁ ନିର୍ଦ୍ଧାରଣ କରିଅଛୁ; ତହିଁରେ ସଦାପ୍ରଭୁ ଅବ୍ରହାମଙ୍କ ବିଷୟରେ ଆପଣା କଥିତ ବାକ୍ୟ ସିଦ୍ଧ କରିବେ।” 20ସଦାପ୍ରଭୁ ଆହୁରି କହିଲେ, “ସଦୋମ ଓ ହମୋରାର ବିରୁଦ୍ଧରେ ମହାଧ୍ୱନି ଉଠୁଅଛି, ସେମାନଙ୍କର ପାପ ଅତିଶୟ ଗୁରୁତର; 21ଏଣୁ ଆମ୍ଭେ ତଳକୁ ଦେଖିବାକୁ ଯାଇ ଆମ୍ଭ ନିକଟକୁ ଆଗତ କ୍ରନ୍ଦନ ଅନୁସାରେ ସେମାନେ ସର୍ବତୋଭାବେ କରିଅଛନ୍ତି କି ନାହିଁ, ତାହା ଜାଣିବା।” 22ଏଥିଉତ୍ତାରେ ସେହି ବ୍ୟକ୍ତିମାନେ ସେହିଠାରୁ ବାହୁଡ଼ି ସଦୋମ ଆଡ଼କୁ ଗମନ କଲେ; ମାତ୍ର ଅବ୍ରହାମ ସେ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ଛାମୁରେ ଛିଡ଼ା ହୋଇ ରହିଲେ। 23ଏଥିଉତ୍ତାରେ ଅବ୍ରହାମ ନିକଟକୁ ଯାଇ କହିଲେ, “ଆପଣ କି ଦୁଷ୍ଟ ସହିତ ଧାର୍ମିକକୁ ସଂହାର କରିବେ? 24ହୋଇପାରେ, ନଗର ମଧ୍ୟରେ ପଚାଶ ଜଣ ଧାର୍ମିକ ଥିବେ; ତହିଁ ମଧ୍ୟବର୍ତ୍ତୀ ପଚାଶ ଜଣ ଧାର୍ମିକଙ୍କ ସକାଶେ କି ସେହି ସ୍ଥାନ ରକ୍ଷା ନ କରି ସଂହାର କରିବେ? 25ଦୁଷ୍ଟ ସହିତ ଧାର୍ମିକକୁ ବିନାଶ କରିବାର କର୍ମ ଆପଣଙ୍କଠାରୁ ଦୂରେ ଥାଉ ଓ ଧାର୍ମିକକୁ ଦୁଷ୍ଟର ସମାନ କରିବା ଆପଣଙ୍କଠାରୁ ଦୂରେ ଥାଉ। ସମସ୍ତ ପୃଥିବୀର ବିଚାରକର୍ତ୍ତା କି ନ୍ୟାୟବିଚାର କରିବେ ନାହିଁ?” 26ତହିଁରେ ସଦାପ୍ରଭୁ କହିଲେ, “ଆମ୍ଭେ ଯଦି ସଦୋମ ନଗରରେ ପଚାଶ ଜଣ ଧାର୍ମିକ ଦେଖିବା, ତେବେ ସେମାନଙ୍କ ସକାଶେ ସମସ୍ତ ସ୍ଥାନ ରକ୍ଷା କରିବା।” 27ତହିଁରେ ଅବ୍ରହାମ ପ୍ରତ୍ୟୁତ୍ତର କଲେ, “ଦେଖନ୍ତୁ, ମୁଁ ଧୂଳି ଓ ଭସ୍ମମାତ୍ର ହେଲେ ହେଁ ମୋ ପ୍ରଭୁଙ୍କ ଛାମୁରେ କଥା କହିବାକୁ ପ୍ରବୃତ୍ତ ହୋଇଅଛି। 28ହୋଇପାରେ, ପଚାଶ ଜଣ ଧାର୍ମିକ ମଧ୍ୟରୁ ପାଞ୍ଚ ଜଣ ଊଣା ଥିବେ; ସେହି ପାଞ୍ଚ ଜଣ ଊଣା ହେବା ସକାଶୁ କି ଆପଣ ସମସ୍ତ ନଗର ବିନଷ୍ଟ କରିବେ?” ସଦାପ୍ରଭୁ କହିଲେ, “ଆମ୍ଭେ ପଞ୍ଚଚାଳିଶ ଜଣ ପାଇଲେ, ତାହା ବିନଷ୍ଟ କରିବା ନାହିଁ।” 29ଅବ୍ରହାମ ତାହାଙ୍କୁ ପୁନର୍ବାର କହିଲେ, “ହୋଇପାରେ, ସେଠାରେ ଚାଳିଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି ଚାଳିଶ ଜଣ ସକାଶୁ ତାହା କରିବା ନାହିଁ।” 30ପୁନର୍ବାର ଅବ୍ରହାମ କହିଲେ, “ପ୍ରଭୁ ବିରକ୍ତ ନୋହିଲେ ଆହୁରି କଥାଟିଏ କହିବି; ହୋଇପାରେ, ସେଠାରେ ତିରିଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ତିରିଶ ଜଣ ପାଇଲେ, ତାହା କରିବା ନାହିଁ।” 31ଅବ୍ରହାମ କହିଲେ, “ଦେଖନ୍ତୁ, ପ୍ରଭୁଙ୍କ ଛାମୁରେ ମୁଁ ପୁନର୍ବାର କଥା କହିବାକୁ ପ୍ରବୃତ୍ତ ହୋଇଅଛି; ହୋଇପାରେ, ସେଠାରେ କୋଡ଼ିଏ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି କୋଡ଼ିଏ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।” 32ଅବ୍ରହାମ କହିଲେ, “ପ୍ରଭୁ ବିରକ୍ତ ନୋହିଲେ ଆଉ ଥରେ ମାତ୍ର କହିବି; ହୋଇପାରେ, ସେଠାରେ ଦଶ ଜଣ ମିଳିବେ।” ସଦାପ୍ରଭୁ କହିଲେ, “ସେହି ଦଶ ଜଣ ସକାଶୁ ଆମ୍ଭେ ତାହା ବିନଷ୍ଟ କରିବା ନାହିଁ।” 33ସେତେବେଳେ ସଦାପ୍ରଭୁ ଅବ୍ରହାମଙ୍କ ସହିତ ଏପ୍ରକାର କଥୋପକଥନ ସମାପନ କରି ପ୍ରସ୍ଥାନ କଲେ, ପୁଣି, ଅବ୍ରହାମ ମଧ୍ୟ ସ୍ୱ ସ୍ଥାନକୁ ଫେରିଗଲେ।

ପ୍ରତିଉତ୍ତର ଗୀତ

ଗୀତ 103:1–4, 8–11

1ଦାଉଦଙ୍କର ଗୀତ। ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର; ହେ ମୋହର ଅନ୍ତରସ୍ଥ ସମସ୍ତ, ତାହାଙ୍କ ପବିତ୍ର ନାମର ଧନ୍ୟବାଦ କର। 2ହେ ମୋହର ମନ, ସଦାପ୍ରଭୁଙ୍କର ଧନ୍ୟବାଦ କର ଓ ତାହାଙ୍କର ମଙ୍ଗଳଦାନସବୁ ପାସୋର ନାହିଁ; 3ସେ ତୁମ୍ଭର ଅଧର୍ମସବୁ କ୍ଷମା କରନ୍ତି; ସେ ତୁମ୍ଭର ରୋଗସବୁ ସୁସ୍ଥ କରନ୍ତି; 4ସେ ବିନାଶରୁ ତୁମ୍ଭ ଜୀବନ ମୁକ୍ତ କରନ୍ତି; ସେ ସ୍ନେହପୂର୍ଣ୍ଣ କରୁଣା ଓ ଦୟାରୂପ ମୁକୁଟରେ ତୁମ୍ଭକୁ ଭୂଷିତ କରନ୍ତି; 8ସଦାପ୍ରଭୁ ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର ଓ ଅତ୍ୟନ୍ତ ଦୟାଳୁ। 9ସେ ନିରନ୍ତର ଧମକାଇବେ ନାହିଁ; କିଅବା ସଦାକାଳ ଆପଣା କ୍ରୋଧ ରଖିବେ ନାହିଁ। 10ସେ ଆମ୍ଭମାନଙ୍କ ପାପ ପ୍ରମାଣେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରି ନାହାନ୍ତି, କିଅବା ଆମ୍ଭମାନଙ୍କ ଅଧର୍ମାନୁସାରେ ଆମ୍ଭମାନଙ୍କୁ ପ୍ରତିଫଳ ଦେଇ ନାହାନ୍ତି। 11କାରଣ ପୃଥିବୀରୁ ଆକାଶମଣ୍ଡଳ ଯେପରି ଉଚ୍ଚ, ସେପରି ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ମହତ।

ସୁସମାଚାର

ମାଥି 8:18–22

18ଯୀଶୁ ଆପଣାର ଚାରିଆଡ଼େ ଲୋକସମୂହ ଦେଖି ଆରପାରିକୁ ଯିବା ପାଇଁ ଆଜ୍ଞା ଦେଲେ। 19ପୁଣି, ଜଣେ ଶାସ୍ତ୍ରୀ ତାହାଙ୍କ ନିକଟକୁ ଆସି କହିଲେ, ହେ ଗୁରୁ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁଗମନ କରିବି। 20ସେଥିରେ ଯୀଶୁ ତାହାକୁ କହିଲେ, “କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ଡ ଗୁଞ୍ଜିବାର ସ୍ଥାନ ନାହିଁ।” 21ପୁଣି, ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଜଣେ ତାହାଙ୍କୁ କହିଲେ, ହେ ପ୍ରଭୁ, ପ୍ରଥମେ ଯାଇ ମୋହର ପିତାଙ୍କ ମୃତ୍ୟୁ ପର୍ଯ୍ୟନ୍ତ ଅପେକ୍ଷା କରିବା ପାଇଁ ଏବଂ ତାହାଙ୍କୁ ସମାଧି ଦେବା ପର୍ଯ୍ୟନ୍ତ ରହିବା ପାଇଁ ମୋତେ ଅନୁମତି ଦିଅନ୍ତୁ। 22କିନ୍ତୁ ଯୀଶୁ ତାହାଙ୍କୁ କହିଲେ, “ମୋହର ଅନୁଗମନ କର, ମୃତମାନଙ୍କୁ ଆପଣା ଆପଣା ମୃତ ଲୋକଙ୍କୁ ସମାଧି ଦେବା ପାଇଁ ଛାଡ଼ିଦିଅ।”

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର