Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁନ 2027 › ଜୁନ 29

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 29 ଜୁନ 2027

ମଙ୍ଗଳବାର · ସାଧାରଣ କାଳର 13ତମ ସପ୍ତାହ

ପର୍ବ ଓ ସନ୍ଥ

ସନ୍ଥ ପିତର ଓ ପାଉଲ, ପ୍ରେରିତ

ମହାପର୍ବ · ଉପାସନାର ରଙ୍ଗ: ନାଲି

ଦିନର ପାଠ

ପ୍ରଥମ ପାଠ

ପ୍ରେରି 12:1–11

1ପ୍ରାୟ ସେହି ସମୟରେ ହେରୋଦ ରାଜା ମଣ୍ଡଳୀର କେତେକ ଜଣଙ୍କୁ ଅତ୍ୟାଚାର କରିବା ନିମନ୍ତେ ହସ୍ତକ୍ଷେପ କଲେ। 2ସେ ଯୋହନଙ୍କ ଭାଇ ଯାକୁବଙ୍କୁ ଖଡ୍ଗରେ ବଧ କଲେ। 3ଆଉ ଯିହୁଦୀ ନେତାମାନଙ୍କୁ ସେଥିରେ ସନ୍ତୁଷ୍ଟ ହେବାର ଦେଖି ସେ ପିତରଙ୍କୁ ମଧ୍ୟ ଧରିବାକୁ ଅଗ୍ରସର ହେଲେ। ସେହି ସମୟରେ ଖମୀରଶୂନ୍ୟ ରୁଟିର ପର୍ବ ଥିଲା। 4ପରେ ସେ ତାହାଙ୍କୁ ଧରି କାରାଗାରରେ ନିକ୍ଷେପ କଲେ, ପୁଣି, ନିସ୍ତାର ପର୍ବ ଉତ୍ତାରେ ସେ ତାହାଙ୍କୁ ଲୋକମାନଙ୍କ ନିକଟକୁ ବାହାର କରି ଆଣିବା ନିମନ୍ତେ ମନସ୍ଥ କରି ପ୍ରତ୍ୟେକ ଦଳରେ ଚାରି ଜଣ ଲେଖାଏଁ ଥିବା ଚାରୋଟି ସେନାଦଳ ନିକଟରେ ତାହାଙ୍କୁ ଜଗିବା ପାଇଁ ସମର୍ପଣ କଲେ। 5ଅତଏବ ପିତର କାରାଗାରରେ ରୁଦ୍ଧ ହୋଇ ରହିଲେ, କିନ୍ତୁ ତାହାଙ୍କ ନିମନ୍ତେ ମଣ୍ଡଳୀ ଦ୍ୱାରା ଏକାଗ୍ରଭାବେ ଈଶ୍ବରଙ୍କ ଛାମୁରେ ପ୍ରାର୍ଥନା କରାଯାଉଥିଲା। 6ପରେ ହେରୋଦ ଯେଉଁ ଦିନ ପିତରଙ୍କୁ ବାହାର କରି ଆଣିବା ପାଇଁ ଯାଉଥିଲେ, ସେହି ରାତିରେ ସେ ଦୁଇଟା ଜଞ୍ଜିରରେ ବନ୍ଧା ହୋଇ ଦୁଇ ଜଣ ସୈନ୍ୟଙ୍କ ମଧ୍ୟରେ ଶୋଇଥିଲେ, ଆଉ ପ୍ରହରୀମାନେ ଦ୍ୱାର ସମ୍ମୁଖରେ କାରାଗାର ରକ୍ଷା କରୁଥିଲେ। 7ଆଉ ଦେଖ, ପ୍ରଭୁଙ୍କର ଜଣେ ଦୂତ ଉପସ୍ଥିତ ହେଲେ, ପୁଣି, କୋଠରୀଟି ଆଲୋକମୟ ହେଲା, ଆଉ ସେ ପିତରଙ୍କ କକ୍ଷଦେଶରେ ଆଘାତ କରି ତାହାଙ୍କୁ ଉଠାଇ କହିଲେ, ଶୀଘ୍ର ଉଠ। ସେଥିରେ ତାହାଙ୍କ ହାତରୁ ଜଞ୍ଜିର ଖସିପଡ଼ିଲା। 8ପୁଣି, ଦୂତ ତାହାଙ୍କୁ କହିଲେ, କଟି ବନ୍ଧନ କର ଓ ପାଦୁକା ପିନ୍ଧ। ସେ ସେପରି କଲେ। ଆଉ ସେ ତାହାଙ୍କୁ କହିଲେ, ଆପଣା ବସ୍ତ୍ର ପିନ୍ଧି ମୋହର ପଛେ ପଛେ ଆସ। 9ସେ ବାହାରି ତାହାଙ୍କ ପଛେ ପଛେ ଗଲେ; କିନ୍ତୁ ଦୂତଙ୍କ ଦ୍ୱାରା ଯାହା କରାଗଲା, ତାହା ଯେ ପ୍ରକୃତ, ସେ ତାହା ନ ବୁଝି ଦର୍ଶନ ଦେଖୁଅଛନ୍ତି ବୋଲି ମନେ କରୁଥିଲେ। 10ଯେତେବେଳେ ସେମାନେ ପ୍ରଥମ ଓ ଦ୍ୱିତୀୟ ପ୍ରହରୀ-ଦଳ ଅତିକ୍ରମ କରି, ଯେଉଁ ଲୌହଦ୍ୱାର ଦେଇ ନଗରକୁ ଯିବାକୁ ହୁଏ, ତାହା ନିକଟକୁ ଆସିଲେ, ସେତେବେଳେ ସେହି ଦ୍ୱାର ଆପଣା ମନକୁ ସେମାନଙ୍କ ନିମନ୍ତେ ମେଲା ହୋଇଗଲା, ଆଉ ସେମାନେ ବାହାରିଯାଇ ଗୋଟିଏ ଦାଣ୍ଡର ଶେଷ ମୁଣ୍ଡ ଯାଏ ଗଲେ, ପୁଣି, ସେହିକ୍ଷଣି ସେହି ଦୂତ ତାହାଙ୍କଠାରୁ ଅଦୃଶ୍ୟ ହୋଇଗଲେ। 11ସେତେବେଳେ ପିତର ସଚେତନ ହୋଇ କହିଲେ, ପ୍ରଭୁ ଯେ ଆପଣା ଦୂତଙ୍କୁ ପଠାଇ ହେରୋଦଙ୍କ ହସ୍ତରୁ ଓ ଯିହୁଦୀ ଲୋକମାନଙ୍କ ସମସ୍ତ ଆକାଂକ୍ଷାରୁ ମୋତେ ଉଦ୍ଧାର କରିଅଛନ୍ତି, ଏହା ମୁଁ ଏବେ ନିଶ୍ଚୟ ଜାଣିଲି।

ପ୍ରତିଉତ୍ତର ଗୀତ

ଗୀତ 34:1–8

1ଦାଉଦଙ୍କ ଗୀତ; ଯେତେବେଳେ ସେ ଅବୀମେଲକ୍‍ ସାକ୍ଷାତରେ ଆପଣା ମତି ବଦଳାଇବାରୁ ତାହା ଦ୍ୱାରା ତାଡ଼ିତ ହୋଇ ପ୍ରସ୍ଥାନ କରିଥିଲେ, ସେହି ସମୟର ଗୀତ। ମୁଁ ସର୍ବଦା ସଦାପ୍ରଭୁଙ୍କର ଧନ୍ୟବାଦ କରିବି; ମୋʼ ମୁଖରେ ନିରନ୍ତର ତାହାଙ୍କର ପ୍ରଶଂସା ହେବ। 2ମୋହର ପ୍ରାଣ ସଦାପ୍ରଭୁଙ୍କଠାରେ ଦର୍ପ କରିବ; ନମ୍ର ଲୋକମାନେ ତାହା ଶୁଣି ଆନନ୍ଦିତ ହେବେ। 3ଆହେ, ମୋʼ ସଙ୍ଗେ ସଦାପ୍ରଭୁଙ୍କ ମାହାତ୍ମ୍ୟ ପ୍ରକାଶ କର, ଆସ, ଆମ୍ଭେମାନେ ଏକ ସଙ୍ଗେ ତାହାଙ୍କ ନାମର ପ୍ରତିଷ୍ଠା କରୁ। 4ମୁଁ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି, ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ। 5ସେମାନେ ତାହାଙ୍କ ପ୍ରତି ଦୃଷ୍ଟିପାତ କରି ଦୀପ୍ତିମାନ ହେଲେ; ଆଉ, ସେମାନଙ୍କ ମୁଖ କେବେ ହେଁ ବିବର୍ଣ୍ଣ ନୋହିବ। 6ଏହି ଦୁଃଖୀଲୋକ କାକୂକ୍ତି କଲା, ପୁଣି, ସଦାପ୍ରଭୁ ତାହାର କଥା ଶୁଣିଲେ ଓ ତାହାର ସକଳ ସଙ୍କଟରୁ ତାହାକୁ ଉଦ୍ଧାର କଲେ। 7ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କର ଦୂତ ସେମାନଙ୍କ ଚାରିଆଡ଼େ ଛାଉଣି କରି ସେମାନଙ୍କୁ ଉଦ୍ଧାର କରନ୍ତି। 8ଆହେ, ସଦାପ୍ରଭୁ ଯେ ମଙ୍ଗଳମୟ, ଏହା ଆସ୍ୱାଦନ କରି ଦେଖ; ଯେ ତାହାଙ୍କର ଶରଣାଗତ, ସେ ଲୋକ ଧନ୍ୟ।

ଦ୍ୱିତୀୟ ପାଠ

ଦ୍ଵି.ତୀମ 4:6–8, 17–18

6କାରଣ ଏବେ ହେଁ ମୋହର ପ୍ରାଣ ଆହୂତି ପରି ଢଳା ଯାଉଅଛି, ମୋହର ମହାପ୍ରୟାଣର ସମୟ ଉପସ୍ଥିତ। 7ମୁଁ ଉତ୍ତମ ଯୁଦ୍ଧରେ ପ୍ରାଣପଣ କରିଅଛି, ନିରୂପିତ ପଥର ଶେଷ ପର୍ଯ୍ୟନ୍ତ ଦୌଡ଼ିଅଛି, ମୁଁ ବିଶ୍ୱାସ ରକ୍ଷା କରିଅଛି; 8ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ। 17କିନ୍ତୁ ପ୍ରଭୁ ମୋହର ସପକ୍ଷ ହୋଇ ମୋତେ ବଳବାନ୍ କଲେ, ପୁଣି, ମୁଁ ସିଂହ ମୁଖରୁ ରକ୍ଷା ପାଇଲି, ଯେପରି ମୋ ଦ୍ୱାରା ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାରିତ ହୋଇପାରେ ଓ ଅଣଯିହୁଦୀ ସମସ୍ତେ ତାହା ଶୁଣି ପାରନ୍ତି; 18ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ୱର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍‍।

ସୁସମାଚାର

ମାଥି 16:13–19

13ପରେ ଯୀଶୁ କାଇସରିୟା ଫିଲିପ୍ପୀ ଅଞ୍ଚଳକୁ ଆସି ଆପଣା ଶିଷ୍ୟମାନଙ୍କୁ ପଚାରିବାକୁ ଲାଗିଲେ, “ମନୁଷ୍ୟପୁତ୍ର କିଏ ବୋଲି ଲୋକେ କଅଣ କହନ୍ତି?” 14ଏଥିରେ ସେମାନେ କହିଲେ, କେହି କେହି କହନ୍ତି, ବାପ୍ତିଜକ ଯୋହନ, କେହି କେହି ଏଲୀୟ, ଆଉ କେହି କେହି ଯିରିମୀୟ ଅବା ଭାବବାଦୀମାନଙ୍କ ମଧ୍ୟରୁ ଜଣେ। 15ସେ ସେମାନଙ୍କୁ ପଚାରିଲେ, “କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ?” 16ଶିମୋନ ପିତର ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ, ଜୀବନ୍ତ ଈଶ୍ବରଙ୍କ ପୁତ୍ର। 17ଏଥିରେ ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ହେ ଯୂନସର ପୁତ୍ର ଶିମୋନ, ତୁମ୍ଭେ ଧନ୍ୟ, କାରଣ ମନୁଷ୍ୟ ତୁମ୍ଭ ନିକଟରେ ଏହା ପ୍ରକାଶ କରି ନାହିଁ, ବରଂ ମୋହର ସ୍ୱର୍ଗସ୍ଥ ପିତା ଈଶ୍ବର ପ୍ରକାଶ କରିଅଛନ୍ତି। 18ଆଉ ମୁଁ ମଧ୍ୟ ତୁମ୍ଭକୁ କହୁଅଛି, ତୁମ୍ଭେ ପିତର, ପୁଣି, ଏହି ପଥର ଉପରେ ମୁଁ ଆପଣା ମଣ୍ଡଳୀ ତୋଳିବି, ଆଉ ପାତାଳର ବଳ ତାହାକୁ ପରାଜୟ କରିବ ନାହିଁ। 19ମୁଁ ତୁମ୍ଭଙ୍କୁ ସ୍ୱର୍ଗରାଜ୍ୟର ଚାବି ଦେବି, ଆଉ ତୁମ୍ଭେ ପୃଥିବୀରେ ଯାହା କିଛି ବନ୍ଦ କରିବ, ସ୍ୱର୍ଗରେ ତାହା ବନ୍ଦ ରହିବ, ପୁଣି, ପୃଥିବୀରେ ଯାହା କିଛି ମୁକ୍ତ କରିବ, ସ୍ୱର୍ଗରେ ତାହା ମୁକ୍ତ ରହିବ।”

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର