ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 7
ଅର୍ଥୋଡକ୍ସ ପଞ୍ଜିକା · 24 ଜୁନ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 7 ଜୁଲାଇ 2027
ବୁଧବାର · ପେଣ୍ଟିକଷ୍ଟ ପରେ ତୃତୀୟ ସପ୍ତାହ · ସ୍ୱର 1
ପର୍ବ ଓ ସନ୍ଥ
Nativity of the Holy Glorious Prophet, Forerunner, and Baptist of the Lord, John
ପ୍ରେରିତମାନଙ୍କ ଉପବାସ
ମାଛ ଚଳିବ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ସନ୍ଧ୍ୟା ପ୍ରାର୍ଥନା: ପାଠ
ଆଦି 17:15–17, 19; 18:11–14; 21:1–8
15ତହିଁ ଉତ୍ତାରେ ପରମେଶ୍ୱର ଅବ୍ରହାମଙ୍କୁ କହିଲେ, “ତୁମ୍ଭେ ଆପଣା ଭାର୍ଯ୍ୟା ସାରୀକୁ ଆଉ ସାରୀ ବୋଲି ଡାକ ନାହିଁ; ତାହାର ନାମ ସାରା ହେଲା। 16ଆମ୍ଭେ ତାହାକୁ ଆଶୀର୍ବାଦ କରିବା ଓ ତାହାଠାରୁ ତୁମ୍ଭକୁ ଗୋଟିଏ ପୁତ୍ର ଦେବା; ଆମ୍ଭେ ତାହାକୁ ଆଶୀର୍ବାଦ କରିବା, ସେ ନାନା ଗୋଷ୍ଠୀର ଆଦିମାତା ହେବ, ତାହାଠାରୁ ନାନା ଦେଶୀୟ ରାଜାଗଣ ଉତ୍ପନ୍ନ ହେବେ।” 17ସେତେବେଳେ ଅବ୍ରହାମ ମୁହଁ ମାଡ଼ି ପଡ଼ି ହସିଲେ, ପୁଣି, ମନେ ମନେ କହିଲେ, “ପୁରୁଷର ଶହେ ବର୍ଷ ବୟସରେ କି ସନ୍ତାନ ଜାତ ହେବ? ନବେ ବର୍ଷ ବୟସ୍କା ସାରା କି ପ୍ରସବ କରିବ?” 19ସେତେବେଳେ ପରମେଶ୍ୱର କହିଲେ, “ତୁମ୍ଭର ଭାର୍ଯ୍ୟା ସାରା ତୁମ୍ଭ ନିମନ୍ତେ ନିଶ୍ଚୟ ପୁତ୍ର ପ୍ରସବ କରିବ, ପୁଣି, ତୁମ୍ଭେ ତାହାର ନାମ ଇସ୍ହାକ ରଖିବ, ପୁଣି, ଆମ୍ଭେ ତାହା ସହିତ ଆପଣା ନିୟମ ସ୍ଥିର କରିବା; ତାହା ତାହାର ଭବିଷ୍ୟତ ବଂଶ ପକ୍ଷରେ ଚିରସ୍ଥାୟୀ ନିୟମ ହେବ। 18:11ସେହି ସମୟରେ ଅବ୍ରହାମ ଓ ସାରା ବୃଦ୍ଧ ଓ ଗତବୟସ୍କ ଥିଲେ, ପୁଣି, ସାରାଙ୍କର ସ୍ତ୍ରୀଧର୍ମ ନିବୃତ୍ତ ହୋଇଥିଲା। 12ଏନିମନ୍ତେ ସାରା ହସି ମନେ ମନେ କହିଲେ, “ମୋହର ଏହି ଶୀର୍ଣ୍ଣାବସ୍ଥାରେ କି ଏରୂପ ଆନନ୍ଦ ହେବ? ବିଶେଷତଃ ମୋହର ପ୍ରଭୁ ମଧ୍ୟ ବୃଦ୍ଧ।” 13ସେତେବେଳେ ସଦାପ୍ରଭୁ ଅବ୍ରହାମଙ୍କୁ କହିଲେ, “‘ଆପଣାର ବୃଦ୍ଧାବସ୍ଥାରେ କି ନିଶ୍ଚୟ ସନ୍ତାନ ଜନ୍ମିବ,’ ଏହା ଭାବି ସାରା କାହିଁକି ହସିଲା? 14ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ।” 21:1ଏଥିଉତ୍ତାରେ ସଦାପ୍ରଭୁ ଆପଣା ବାକ୍ୟାନୁସାରେ ସାରାର ତତ୍ତ୍ୱାବଧାନ କଲେ; ପୁଣି, ସଦାପ୍ରଭୁ ଯାହା କହିଥିଲେ, ସାରା ପ୍ରତି ତାହା କଲେ। 2ତହିଁରେ ସାରା ଅବ୍ରହାମଙ୍କର ବୃଦ୍ଧାବସ୍ଥାରେ ଗର୍ଭବତୀ ହୋଇ ପରମେଶ୍ୱରଙ୍କ ଦ୍ୱାରା ନିରୂପିତ ସମୟରେ ପୁତ୍ର ପ୍ରସବ କଲେ। 3ସେତେବେଳେ ଅବ୍ରହାମ ସାରାର ଗର୍ଭଜାତ ନିଜ ପୁତ୍ରର ନାମ ଇସ୍ହାକ ରଖିଲେ। 4ପୁଣି, ଅବ୍ରହାମ ପରମେଶ୍ୱରଙ୍କ ଆଜ୍ଞାନୁସାରେ ଆପଣା ପୁତ୍ର ଇସ୍ହାକକୁ ଅଷ୍ଟମ ଦିନରେ ସୁନ୍ନତ କଲେ। 5ଅବ୍ରହାମଙ୍କର ଶହେ ବର୍ଷ ବୟସରେ ତାଙ୍କର ପୁତ୍ର ଇସ୍ହାକ ଜାତ ହେଲା। 6ଆଉ ସାରା କହିଲେ, “ପରମେଶ୍ୱର ମୋତେ ହସାଇଲେ, ଏହା ଶୁଣି ସମସ୍ତେ ମୋʼ ସହିତ ହସିବେ।” 7ସେ ଆହୁରି କହିଲେ, “ସାରା ସନ୍ତାନମାନଙ୍କୁ ସ୍ତନପାନ କରାଇବ, ଏ କଥା ଅବ୍ରହାମଙ୍କୁ କିଏ କହିପାରନ୍ତା? ଯେହେତୁ ମୁଁ ଏବେ ତାଙ୍କର ବୃଦ୍ଧାବସ୍ଥାରେ ପୁତ୍ର ପ୍ରସବ କଲି।” 8ଆଉ ବାଳକ ବଡ଼ ହୁଅନ୍ତେ, ସେମାନେ ତାକୁ ସ୍ତନପାନ ତ୍ୟାଗ କରାଇଲେ; ପୁଣି, ଯେଉଁ ଦିନ ଇସ୍ହାକକୁ ସ୍ତନପାନ ତ୍ୟାଗ କରାଇଲେ, ସେହି ଦିନ ଅବ୍ରହାମ ମହାଭୋଜ ପ୍ରସ୍ତୁତ କଲେ।
ସନ୍ଧ୍ୟା ପ୍ରାର୍ଥନା: ପାଠ
ବିଚାର 13:2–8, 13–14, 17–18, 21
2ସେହି ସମୟରେ ଦାନୀୟ ଗୋଷ୍ଠୀ ମଧ୍ୟରେ ସରାୟ ନିବାସୀ ଏକ ମନୁଷ୍ୟ ଥିଲା, ତାହାର ନାମ ମାନୋହ; ତାହାର ଭାର୍ଯ୍ୟା ବନ୍ଧ୍ୟା ଓ ପ୍ରସବ କରି ନ ଥିଲା। 3ପୁଣି ସଦାପ୍ରଭୁଙ୍କ ଦୂତ ସେହି ସ୍ତ୍ରୀକୁ ଦର୍ଶନ ଦେଇ ତାହାକୁ କହିଲେ, “ଦେଖ, ତୁମ୍ଭେ ବନ୍ଧ୍ୟା ଓ ପ୍ରସବ କରି ନାହଁ; ମାତ୍ର ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ। 4ଏହେତୁ ଏବେ ଏହା କର ଓ ତୁମ୍ଭେ ସାବଧାନ ହୁଅ, ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ; 5କାରଣ ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ, ଆଉ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ଯେହେତୁ ସେ ବାଳକ ଗର୍ଭାବଧି ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ ଓ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରିବାକୁ ଆରମ୍ଭ କରିବ।” 6ଏଉତ୍ତାରେ ସେହି ସ୍ତ୍ରୀ ଆସି ଆପଣା ସ୍ୱାମୀକୁ କହିଲା, “ପରମେଶ୍ୱରଙ୍କର ଏକ ଲୋକ ମୋʼ ନିକଟକୁ ଆସିଲେ। ତାହାଙ୍କ ରୂପ ପରମେଶ୍ୱରଙ୍କ ଦୂତଙ୍କ ରୂପ ତୁଲ୍ୟ ଅତି ଭୟଙ୍କର; ମାତ୍ର ସେ କେଉଁଠାରୁ ଆସିଲେ, ଏହା ମୁଁ ତାହାଙ୍କୁ ପଚାରିଲି ନାହିଁ, କିଅବା ସେ ଆପଣା ନାମ ମୋତେ କହିଲେ ନାହିଁ; 7ମାତ୍ର ସେ ମୋତେ କହିଲେ, ‘ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ; ଏହେତୁ ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ; କାରଣ ସେହି ବାଳକ ଗର୍ଭାବଧି ମରଣ ଦିନ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ,’” 8ତହିଁରେ ମାନୋହ ସଦାପ୍ରଭୁଙ୍କୁ ବିନତି କରି କହିଲା, “ହେ ପ୍ରଭୋ, ବିନୟ କରୁଅଛି, ପରମେଶ୍ୱରଙ୍କ ଯେଉଁ ଲୋକଙ୍କୁ ଆପଣ ପଠାଇଥିଲେ, ସେ ଆମ୍ଭମାନଙ୍କ ନିକଟକୁ ପୁନର୍ବାର ଆସନ୍ତୁ ଓ ଯେଉଁ ବାଳକ ଜନ୍ମିବ, ତାହା ପ୍ରତି ଆମ୍ଭମାନଙ୍କର କି କର୍ତ୍ତବ୍ୟ, ଏହା ଆମ୍ଭମାନଙ୍କୁ ଶିଖାଉନ୍ତୁ।” 13ତହିଁରେ ସଦାପ୍ରଭୁଙ୍କ ଦୂତ ମାନୋହକୁ କହିଲେ, “ଆମ୍ଭେ ସେହି ସ୍ତ୍ରୀକୁ ଯାହା ଯାହା କହିଅଛୁ, ତାହାସବୁ ସେ ମାନୁ। 14ସେ ଦ୍ରାକ୍ଷାଲତାଜାତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ, ଅବା ସେ ଦ୍ରାକ୍ଷାରସ କି ମଦ୍ୟ ପାନ ନ କରୁ, କିଅବା କୌଣସି ଅଶୁଚି ଦ୍ରବ୍ୟ ଭୋଜନ ନ କରୁ; ଆମ୍ଭେ ତାହାକୁ ଯାହା ଯାହା ଆଜ୍ଞା କରିଅଛୁ, ତାହାସବୁ ସେ ମାନୁ।” 17ଏଥିଉତ୍ତାରେ ମାନୋହ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, “ଆପଣଙ୍କର ନାମ କଅଣ? ଆପଣଙ୍କ ବାକ୍ୟ ସଫଳ ହେଲେ, ଆମ୍ଭେମାନେ ଆପଣଙ୍କର ଗୌରବ କରିବୁ।” 18ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, “ତୁମ୍ଭେ ଆମ୍ଭ ନାମ କାହିଁକି ପଚାରୁଅଛ, ତାହା ତ ଆଶ୍ଚର୍ଯ୍ୟ?” 21ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ମାନୋହକୁ ଓ ତାହାର ଭାର୍ଯ୍ୟାକୁ ଆଉ ଦର୍ଶନ ଦେଲେ ନାହିଁ। ତହୁଁ ସେ ସଦାପ୍ରଭୁଙ୍କ ଦୂତ ବୋଲି ମାନୋହ ଜାଣିଲା।
ପ୍ରଭାତୀ ପ୍ରାର୍ଥନା: ସୁସମାଚାର
24ଏଥିଉତ୍ତାରେ ତାହାଙ୍କ ଭାର୍ଯ୍ୟା ଏଲୀଶାବେଥ ଗର୍ଭବତୀ ହେଲେ, ଆଉ ସେ ପାଞ୍ଚ ମାସ ଗୋପନରେ ରହି କହିଲେ, 25ଲୋକମାନଙ୍କ ମଧ୍ୟରେ ମୋହର ଅପମାନ ଦୂର କରିବା ନିମନ୍ତେ ପ୍ରଭୁ କୃପାଦୃଷ୍ଟି କରି ମୋʼ ପ୍ରତି ଏପରି କରିଅଛନ୍ତି। 57ପରେ ଏଲୀଶାବେଥଙ୍କ ପ୍ରସବ କାଳ ଉପସ୍ଥିତ ହୁଅନ୍ତେ ସେ ଗୋଟିଏ ପୁତ୍ର ପ୍ରସବ କଲେ, 58ଆଉ ପ୍ରଭୁ ଯେ ତାହାଙ୍କ ପ୍ରତି ମହା ଦୟା ପ୍ରକାଶ କରିଅଛନ୍ତି, ଏହା ଶୁଣି ତାହାଙ୍କ ପ୍ରତିବାସୀ ଓ ସମ୍ପର୍କୀୟମାନେ ତାହାଙ୍କ ସହିତ ଆନନ୍ଦ କରିବାକୁ ଲାଗିଲେ। 59ଆଠ ଦିନରେ ସେମାନେ ଶିଶୁକୁ ସୁନ୍ନତ କରିବାକୁ ଆସିଲେ ଓ ତାହାର ପିତାଙ୍କ ନାମ ଅନୁସାରେ ତାହାର ନାମ ଜିଖରୀୟ ଦେବାକୁ ଇଚ୍ଛା କଲେ। 60କିନ୍ତୁ ତାହାର ମାତା ଉତ୍ତର ଦେଲେ, ନାହିଁ, ତାହାର ନାମ ଯୋହନ ହେବ। 61ସେମାନେ ତାହାଙ୍କୁ କହିଲେ, ତୁମ୍ଭର ସମ୍ପର୍କୀୟମାନଙ୍କ ମଧ୍ୟରେ ତ କାହାର ଏହି ନାମ ନାହିଁ। 62ଏଥିରେ ତାହାକୁ କେଉଁ ନାମ ଦିଆଯିବ ବୋଲି ତାହାର ପିତା ଇଚ୍ଛା କରୁଅଛନ୍ତି, ତାହା ସଙ୍କେତ କରି ପଚାରିବାକୁ ଲାଗିଲେ। 63ତହିଁରେ ସେ ଖଣ୍ଡେ ଲିଖନ ପଟା ମାଗି ଏହା ଲେଖିଲେ, ତାହାର ନାମ ଯୋହନ। ଏଥିରେ ସମସ୍ତେ ଚକିତ ହେଲେ। 64ଆଉ ସେହିକ୍ଷଣି ତାହାଙ୍କ ମୁଖ ଓ ଜିହ୍ୱା ଫିଟିଗଲା ଏବଂ ସେ କଥା କହି ଈଶ୍ବରଙ୍କ ପ୍ରଶଂସା କରିବାକୁ ଲାଗିଲେ। 65ଏଥିରେ ସେମାନଙ୍କ ପ୍ରତିବାସୀ ସମସ୍ତେ ଭୟଗ୍ରସ୍ତ ହେଲେ, ଆଉ ଏହି ସମସ୍ତ କଥା ଯିହୂଦିୟା ପ୍ରଦେଶର ପାର୍ବତୀୟ ଅଞ୍ଚଳର ସବୁଆଡ଼େ ଲୋକେ କୁହାକହି ହେଲେ, 66ପୁଣି, ଶୁଣିବା ଲୋକ ସମସ୍ତେ ସେହିସବୁ ଆପଣା ଆପଣା ହୃଦୟରେ ରଖି କହିଲେ, ଏ ଶିଶୁଟି ତେବେ କଅଣ ହେବ? କାରଣ ପ୍ରଭୁଙ୍କ ହସ୍ତ ତାହାର ସହବର୍ତ୍ତୀ। 67ଆଉ, ତାହାର ପିତା ଜିଖରୀୟ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଏହି ଭାବବାଣୀ କହିଲେ, 68“ଧନ୍ୟ ପ୍ରଭୁ, ଇସ୍ରାଏଲର ଈଶ୍ବର, କାରଣ ସେ କୃପାଦୃଷ୍ଟି କରି, ଆପଣା ଲୋକଙ୍କ ନିମନ୍ତେ ମୁକ୍ତି ସାଧନ କରିଅଛନ୍ତି; 76ଆଉ ହେ ଶିଶୁ, ତୁ ପରାତ୍ପରଙ୍କ ଭାବବାଦୀ ବୋଲି ଖ୍ୟାତ ହେବୁ; 80ପୁଣି, ଶିଶୁ ବୃଦ୍ଧି ପାଇ ଆତ୍ମାରେ ଶକ୍ତିମାନ ହେବାକୁ ଲାଗିଲେ ଏବଂ ଇସ୍ରାଏଲ ନିକଟରେ ପ୍ରକାଶିତ ନ ହେବା ପର୍ଯ୍ୟନ୍ତ ପ୍ରାନ୍ତରରେ ରହିଲେ।
ପତ୍ର (ଅଗ୍ରଦୂତଙ୍କ ପାଇଁ)
11ପୁଣି, ଏବେ ତୁମ୍ଭମାନଙ୍କର ନିଦ୍ରାରୁ ଜାଗ୍ରତ ହେବାର ସମୟ ଯେ ଉପସ୍ଥିତ, ଏହା ଜାଣି ଏହିସବୁ କର; କାରଣ ଆମ୍ଭମାନଙ୍କ ବିଶ୍ୱାସ କରିବାର ଦିନଠାରୁ ବର୍ତ୍ତମାନ ପରିତ୍ରାଣ ଆମ୍ଭମାନଙ୍କର ଅଧିକ ସନ୍ନିକଟ। 12ରାତ୍ରି ପାହାନ୍ତା ହେଉଅଛି, ଦିବସ ସନ୍ନିକଟ; ଅତଏବ ଆସ, ଆମ୍ଭେମାନେ ଅନ୍ଧକାରର କର୍ମସବୁ ପରିତ୍ୟାଗ କରି ଆଲୋକର ସଜ୍ଜା ପରିଧାନ କରୁ। 13ରଙ୍ଗରସ ଓ ମତ୍ତତାରେ, ଲମ୍ପଟତା ଓ କାମୁକତାରେ, ବିବାଦ ଓ ଈର୍ଷାରେ ଆଚରଣ ନ କରି ଆସ, ଆମ୍ଭେମାନେ ଦିବସର ବିହିତ ଭଦ୍ର ଆଚରଣ କରୁ। 14ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ତୃପ୍ତି କରିବା ସକାଶେ ଶରୀର ନିମନ୍ତେ ଆୟୋଜନ କର ନାହିଁ। 14:1ବିଶ୍ୱାସରେ ଯେ ଦୁର୍ବଳ, ତାହାକୁ ଗ୍ରହଣ କର, କିନ୍ତୁ ବିଭିନ୍ନ ମତ ସମ୍ବନ୍ଧରେ ତର୍କବିତର୍କ କରିବା ନିମନ୍ତେ ତାହା କର ନାହିଁ। 2ସମସ୍ତ ପଦାର୍ଥ ଭୋଜନ କରିବା ନିମନ୍ତେ ଜଣେ ଲୋକର ବିଶ୍ୱାସ ଅଛି, କିନ୍ତୁ ଯେ ବିଶ୍ୱାସରେ ଦୁର୍ବଳ, ସେ କେବଳ ଶାକ ଭୋଜନ କରେ। 3ଯେ ଭୋଜନ କରେ, ସେ ଭୋଜନ ନ କରିବା ଲୋକକୁ ତୁଚ୍ଛ ନ କରୁ; ପୁଣି, ଯେ ଭୋଜନ କରେ ନାହିଁ, ସେ ଭୋଜନ କରିବା ଲୋକର ବିଚାର ନ କରୁ, କାରଣ ଈଶ୍ବର ତାହାକୁ ଗ୍ରହଣ କରିଅଛନ୍ତି। 4ତୁମ୍ଭେ କିଏ ଯେ ଅନ୍ୟର ଦାସର ବିଚାର କରୁଅଛ? ସେ ଆପଣା ପ୍ରଭୁ ନିକଟରେ ସ୍ଥିର ରୁହେ ବା ପତିତ ହୁଏ; ହଁ, ତାହାକୁ ସ୍ଥିର ରଖାଯିବ, କାରଣ ତାହାକୁ ସ୍ଥିର ରଖିବାକୁ ପ୍ରଭୁଙ୍କର ଶକ୍ତି ଅଛି।
ସୁସମାଚାର (ଅଗ୍ରଦୂତଙ୍କ ପାଇଁ)
1ଆରମ୍ଭରୁ ଯେଉଁମାନେ ଚାକ୍ଷୁଷ ସାକ୍ଷୀ ଓ ବାକ୍ୟର ପରିଚାରକ, ସେମାନେ ଆମ୍ଭମାନଙ୍କୁ ସମର୍ପଣ କରିବା ଅନୁସାରେ, 2ଆମ୍ଭମାନଙ୍କ ମଧ୍ୟରେ ଘଟିଥିବା ଘଟଣାବଳୀର ବିବରଣ ଅନେକେ ଶୃଙ୍ଖଳିତ ରୂପେ ଲିପିବଦ୍ଧ କରିବାକୁ ଆଗ୍ରହ ପ୍ରକାଶ କରିଅଛନ୍ତି। 3ଅତଏବ, ହେ ମାନ୍ୟବର ଥୀୟଫିଲ, ଆରମ୍ଭରୁ ସମସ୍ତ ବିଷୟ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରି ସେଥିର ଧାରାବାହିକ ବିବରଣ ଆପଣଙ୍କ ନିମନ୍ତେ ଲେଖିବାକୁ ମୁଁ ମଧ୍ୟ ଉଚିତ୍ ମନେ କଲି, 4ଯେପରି ଆପଣ ଯେ ସମସ୍ତ ବିଷୟ ଶିକ୍ଷା ପାଇଅଛନ୍ତି, ସେସବୁର ନିଶ୍ଚୟତା ଜାଣି ପାରନ୍ତି। 5ଯିହୂଦିୟା ପ୍ରଦେଶର ରାଜା ହେରୋଦଙ୍କ ସମୟରେ ଅବିୟଙ୍କ ଦଳର ଜିଖରୀୟ ନାମରେ ଜଣେ ଯାଜକ ଥିଲେ; ତାହାଙ୍କ ଭାର୍ଯ୍ୟା ହାରୋଣ ବଂଶର କନ୍ୟା, ତାହାଙ୍କର ନାମ ଏଲୀଶାବେଥ। 6ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ନିୟମ ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଈଶ୍ବରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ। 7କିନ୍ତୁ ସେମାନଙ୍କର ସନ୍ତାନ ନ ଥିଲା, କାରଣ ଏଲୀଶାବେଥ ବନ୍ଧ୍ୟା ଥିଲେ, ପୁଣି, ଉଭୟଙ୍କ ବୟସ ଅଧିକ ହୋଇଯାଇଥିଲା। 8ସେ ଆପଣା ଦଳର ପାଳି ଅନୁସାରେ ଈଶ୍ବରଙ୍କ ନିକଟରେ ଯାଜକ କାର୍ଯ୍ୟ କରୁଥିବା ସମୟରେ, 9ଯାଜକୀୟ କାର୍ଯ୍ୟର ରୀତି ଅନୁଯାୟୀ ଗୁଲିବାଣ୍ଟ ଦ୍ୱାରା ତାହାଙ୍କୁ ପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କରି ଧୂପ ଦେବାକୁ ପଡ଼ିଲା, 10ଆଉ ଧୂପ ଦେବା ସମୟରେ ସମସ୍ତ ଜନତା ବାହାରେ ପ୍ରାର୍ଥନା କରୁଥିଲେ। 11ସେତେବେଳେ ପ୍ରଭୁଙ୍କର ଜଣେ ଦୂତ ଧୂପବେଦିର ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇ ତାହାଙ୍କୁ ଦର୍ଶନ ଦେଲେ। 12ଜିଖରୀୟ ତାହାଙ୍କୁ ଦେଖି ବିଚଳିତ ଓ ଭୟଗ୍ରସ୍ତ ହେଲେ। 13କିନ୍ତୁ ଦୂତ ତାହାଙ୍କୁ କହିଲେ, ଜିଖରୀୟ, ଭୟ କର ନାହିଁ, କାରଣ ତୁମ୍ଭର ନିବେଦନ ଶୁଣାଯାଇଅଛି, ଆଉ ତୁମ୍ଭର ଭାର୍ଯ୍ୟା ଏଲୀଶାବେଥ ତୁମ୍ଭ ନିମନ୍ତେ ଗୋଟିଏ ପୁତ୍ର ପ୍ରସବ କରିବେ, ପୁଣି, ତୁମ୍ଭେ ତାହାର ନାମ ଯୋହନ ଦେବ। 14ସେ ତୁମ୍ଭର ଆନନ୍ଦ ଓ ଉଲ୍ଲାସର କାରଣ ହେବ, ପୁଣି, ଅନେକେ ତାହାର ଜନ୍ମରେ ଆନନ୍ଦ କରିବେ। 15ଯେଣୁ ସେ ପ୍ରଭୁଙ୍କ ଛାମୁରେ ମହାନ ହେବ; ସେ ଦ୍ରାକ୍ଷାରସ କି ମଦ୍ୟ କେବେ ହେଁ ପାନ କରିବ ନାହିଁ, ପୁଣି, ମାତାର ଉଦରରୁ ହିଁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବ, 16ଆଉ ସେ, ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରୁ ଅନେକଙ୍କୁ ପ୍ରଭୁ ସେମାନଙ୍କ ଈଶ୍ବରଙ୍କ ପ୍ରତି ଫେରାଇବ। 17ପିତାମାନଙ୍କ ହୃଦୟ ସନ୍ତାନମାନଙ୍କ ପ୍ରତି ଓ ଅବାଧ୍ୟମାନଙ୍କୁ ଧାର୍ମିକମାନଙ୍କ ଜ୍ଞାନରେ ଆଚରଣ କରିବା ନିମନ୍ତେ ଫେରାଇବାକୁ ଏବଂ ପ୍ରଭୁଙ୍କ ସକାଶେ ସୁସଜ୍ଜିତ ଗୋଟିଏ ପ୍ରଜାମଣ୍ଡଳୀ ପ୍ରସ୍ତୁତ କରିବାକୁ ସେ ଏଲୀୟଙ୍କ ଆତ୍ମା ଓ ଶକ୍ତିରେ ପ୍ରଭୁଙ୍କ ଆଗରେ ଗମନ କରିବ। 18ଏଥିରେ ଜିଖରୀୟ ଦୂତଙ୍କୁ କହିଲେ, ମୁଁ କେଉଁ ଚିହ୍ନ ଦ୍ୱାରା ଏହା ଜାଣିବି? କାରଣ ମୁଁ ତ ବୃଦ୍ଧ, ପୁଣି, ମୋହର ଭାର୍ଯ୍ୟାଙ୍କ ବୟସ ଅଧିକ ହେଲାଣି। 19ଦୂତ ତାହାଙ୍କୁ ଉତ୍ତର ଦେଲେ, ମୁଁ ଗାବ୍ରିଏଲ, ମୁଁ ଈଶ୍ବରଙ୍କ ଉପସ୍ଥିତିରେ ଠିଆ ହୁଏ, ଆଉ ତୁମ୍ଭକୁ କହିବାକୁ ଓ ଏହି ସୁସମାଚାର ଜଣାଇବାକୁ ମୁଁ ପଠାଯାଇଅଛି। 20ଦେଖ, ଏହି ସମସ୍ତ ନ ଘଟିବା ଦିନ ପର୍ଯ୍ୟନ୍ତ ତୁମ୍ଭେ ନୀରବ ରହି କଥା କହି ପାରିବ ନାହିଁ, କାରଣ ମୋହର ଯେଉଁ ସବୁ ବାକ୍ୟ ଯଥା ସମୟରେ ସଫଳ ହେବ, ସେହିସବୁ ତୁମ୍ଭେ ବିଶ୍ୱାସ କଲ ନାହିଁ। 21ଇତିମଧ୍ୟରେ ଲୋକମାନେ ଜିଖରୀୟଙ୍କ ଅପେକ୍ଷାରେ ଥିଲେ, ଆଉ ମନ୍ଦିରରେ ତାଙ୍କର ବିଳମ୍ବ ଘଟିବାରେ ସେମାନେ ଆଶ୍ଚର୍ଯ୍ୟ ହେଉଥିଲେ। 22କିନ୍ତୁ ସେ ବାହାରି ଆସି ସେମାନଙ୍କୁ କଥା କହି ପାରିଲେ ନାହିଁ; ଏଥିରେ ସେ ମନ୍ଦିରରେ ଦର୍ଶନ ପାଇଅଛନ୍ତି ବୋଲି ସେମାନେ ବୁଝିଲେ, ଆଉ ସେ ସେମାନଙ୍କୁ ସଙ୍କେତ କରିବାକୁ ଲାଗିଲେ ଓ ମୂକ ହୋଇ ରହିଲେ। 23ପରେ ତାହାଙ୍କ ସେବାପାଳିର ଦିନସବୁ ଶେଷ ହୁଅନ୍ତେ, ସେ ଆପଣା ଘରକୁ ଗଲେ। 24ଏଥିଉତ୍ତାରେ ତାହାଙ୍କ ଭାର୍ଯ୍ୟା ଏଲୀଶାବେଥ ଗର୍ଭବତୀ ହେଲେ, ଆଉ ସେ ପାଞ୍ଚ ମାସ ଗୋପନରେ ରହି କହିଲେ, 25ଲୋକମାନଙ୍କ ମଧ୍ୟରେ ମୋହର ଅପମାନ ଦୂର କରିବା ନିମନ୍ତେ ପ୍ରଭୁ କୃପାଦୃଷ୍ଟି କରି ମୋʼ ପ୍ରତି ଏପରି କରିଅଛନ୍ତି। 57ପରେ ଏଲୀଶାବେଥଙ୍କ ପ୍ରସବ କାଳ ଉପସ୍ଥିତ ହୁଅନ୍ତେ ସେ ଗୋଟିଏ ପୁତ୍ର ପ୍ରସବ କଲେ, 58ଆଉ ପ୍ରଭୁ ଯେ ତାହାଙ୍କ ପ୍ରତି ମହା ଦୟା ପ୍ରକାଶ କରିଅଛନ୍ତି, ଏହା ଶୁଣି ତାହାଙ୍କ ପ୍ରତିବାସୀ ଓ ସମ୍ପର୍କୀୟମାନେ ତାହାଙ୍କ ସହିତ ଆନନ୍ଦ କରିବାକୁ ଲାଗିଲେ। 59ଆଠ ଦିନରେ ସେମାନେ ଶିଶୁକୁ ସୁନ୍ନତ କରିବାକୁ ଆସିଲେ ଓ ତାହାର ପିତାଙ୍କ ନାମ ଅନୁସାରେ ତାହାର ନାମ ଜିଖରୀୟ ଦେବାକୁ ଇଚ୍ଛା କଲେ। 60କିନ୍ତୁ ତାହାର ମାତା ଉତ୍ତର ଦେଲେ, ନାହିଁ, ତାହାର ନାମ ଯୋହନ ହେବ। 61ସେମାନେ ତାହାଙ୍କୁ କହିଲେ, ତୁମ୍ଭର ସମ୍ପର୍କୀୟମାନଙ୍କ ମଧ୍ୟରେ ତ କାହାର ଏହି ନାମ ନାହିଁ। 62ଏଥିରେ ତାହାକୁ କେଉଁ ନାମ ଦିଆଯିବ ବୋଲି ତାହାର ପିତା ଇଚ୍ଛା କରୁଅଛନ୍ତି, ତାହା ସଙ୍କେତ କରି ପଚାରିବାକୁ ଲାଗିଲେ। 63ତହିଁରେ ସେ ଖଣ୍ଡେ ଲିଖନ ପଟା ମାଗି ଏହା ଲେଖିଲେ, ତାହାର ନାମ ଯୋହନ। ଏଥିରେ ସମସ୍ତେ ଚକିତ ହେଲେ। 64ଆଉ ସେହିକ୍ଷଣି ତାହାଙ୍କ ମୁଖ ଓ ଜିହ୍ୱା ଫିଟିଗଲା ଏବଂ ସେ କଥା କହି ଈଶ୍ବରଙ୍କ ପ୍ରଶଂସା କରିବାକୁ ଲାଗିଲେ। 65ଏଥିରେ ସେମାନଙ୍କ ପ୍ରତିବାସୀ ସମସ୍ତେ ଭୟଗ୍ରସ୍ତ ହେଲେ, ଆଉ ଏହି ସମସ୍ତ କଥା ଯିହୂଦିୟା ପ୍ରଦେଶର ପାର୍ବତୀୟ ଅଞ୍ଚଳର ସବୁଆଡ଼େ ଲୋକେ କୁହାକହି ହେଲେ, 66ପୁଣି, ଶୁଣିବା ଲୋକ ସମସ୍ତେ ସେହିସବୁ ଆପଣା ଆପଣା ହୃଦୟରେ ରଖି କହିଲେ, ଏ ଶିଶୁଟି ତେବେ କଅଣ ହେବ? କାରଣ ପ୍ରଭୁଙ୍କ ହସ୍ତ ତାହାର ସହବର୍ତ୍ତୀ। 67ଆଉ, ତାହାର ପିତା ଜିଖରୀୟ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଏହି ଭାବବାଣୀ କହିଲେ, 68“ଧନ୍ୟ ପ୍ରଭୁ, ଇସ୍ରାଏଲର ଈଶ୍ବର, କାରଣ ସେ କୃପାଦୃଷ୍ଟି କରି, ଆପଣା ଲୋକଙ୍କ ନିମନ୍ତେ ମୁକ୍ତି ସାଧନ କରିଅଛନ୍ତି; 76ଆଉ ହେ ଶିଶୁ, ତୁ ପରାତ୍ପରଙ୍କ ଭାବବାଦୀ ବୋଲି ଖ୍ୟାତ ହେବୁ; 80ପୁଣି, ଶିଶୁ ବୃଦ୍ଧି ପାଇ ଆତ୍ମାରେ ଶକ୍ତିମାନ ହେବାକୁ ଲାଗିଲେ ଏବଂ ଇସ୍ରାଏଲ ନିକଟରେ ପ୍ରକାଶିତ ନ ହେବା ପର୍ଯ୍ୟନ୍ତ ପ୍ରାନ୍ତରରେ ରହିଲେ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁନ 24 ନାଗରିକ ପଞ୍ଜିକାର ଜୁଲାଇ 7। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର