ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 11
ଅର୍ଥୋଡକ୍ସ ପଞ୍ଜିକା · 28 ଜୁନ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 11 ଜୁଲାଇ 2027
ରବିବାର · ସ୍ୱର 2
ପର୍ବ ଓ ସନ୍ଥ
ପେଣ୍ଟିକଷ୍ଟ ପରେ ତୃତୀୟ ରବିବାର
ପ୍ରେରିତମାନଙ୍କ ଉପବାସ
ମାଛ ଚଳିବ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପ୍ରଭାତୀ ପ୍ରାର୍ଥନାର ତୃତୀୟ ସୁସମାଚାର
9[ସପ୍ତାହର ପ୍ରଥମ ଦିବସ ପ୍ରତ୍ୟୁଷରେ ଯୀଶୁ ପୁନରୁତ୍ଥାନ କରି, ଯାହାଙ୍କଠାରୁ ସାତ ଭୂତ ଛଡ଼ାଇଥିଲେ, ସେହି ମଗ୍ଦଲୀନୀ ମରୀୟମଙ୍କୁ ପ୍ରଥମରେ ଦର୍ଶନ ଦେଲେ। 10ସେ ଯାଇ, ଯେଉଁମାନେ ତାହାଙ୍କ ସଙ୍ଗୀ ହୋଇଥିଲେ, ସେମାନଙ୍କୁ ସମ୍ବାଦ ଦେଲେ; ସେମାନେ ଶୋକ ଓ ରୋଦନ କରୁଥିଲେ। 11ଯୀଶୁ ଯେ ଜୀବିତ ଅଟନ୍ତି ଓ ତାହାଙ୍କୁ ଦର୍ଶନ ଦେଇଅଛନ୍ତି, ଏହା ଶୁଣି ସେମାନେ ବିଶ୍ୱାସ କଲେ ନାହିଁ। 12ଏହି ସମସ୍ତ ଘଟଣା ଉତ୍ତାରେ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଗୋଟିଏ ପଲ୍ଲୀଗ୍ରାମକୁ ଯାଉଥିବା ସମୟରେ ସେ ଅନ୍ୟ ରୂପରେ ସେମାନଙ୍କୁ ଦର୍ଶନ ଦେଲେ, 13ପୁଣି, ସେମାନେ ଯାଇ ଅନ୍ୟମାନଙ୍କୁ ସମ୍ବାଦ ଦେଲେ; କିନ୍ତୁ ସେମାନଙ୍କ କଥା ସୁଦ୍ଧା ସେମାନେ ବିଶ୍ୱାସ କଲେ ନାହିଁ। 14ଏଥିଉତ୍ତାରେ ଏଗାର ଜଣ ଶିଷ୍ୟମାନେ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ୱାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଲେ, ସେମାନଙ୍କ କଥା ସେମାନେ ବିଶ୍ୱାସ କରି ନ ଥିଲେ। 15ପୁଣି, ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର। 16ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ। 17ଆଉ ଏହିସବୁ ଚିହ୍ନ ସେମାନଙ୍କର ଅନୁବର୍ତ୍ତୀ ହେବ ଯେଉଁମାନେ ତାହାଙ୍କଠାରେ ବିଶ୍ୱାସ କରନ୍ତି, ସେମାନେ ମୋ ନାମରେ ଭୂତ ଛଡ଼ାଇବେ, ନୂତନ ନୂତନ ଭାଷାରେ କଥା କହିବେ, ହସ୍ତରେ ସର୍ପ ଧରିବେ, 18ପୁଣି, ପ୍ରାଣନାଶକ କୌଣସି ପଦାର୍ଥ ପାନ କଲେ ସେମାନଙ୍କର କିଛି କ୍ଷତି ହେବ ନାହିଁ; ସେମାନେ ପୀଡ଼ିତମାନଙ୍କ ଉପରେ ହସ୍ତ ଥୋଇଲେ ସେମାନେ ସୁସ୍ଥ ହେବେ।” 19ଏହି ରୂପେ ପ୍ରଭୁ ଯୀଶୁ ସେମାନଙ୍କୁ କଥା କହିବା ପରେ ସ୍ୱର୍ଗରେ ଗୃହୀତ ହୋଇ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ବସିଲେ। 20କିନ୍ତୁ ସେମାନେ ପ୍ରସ୍ଥାନ କରି ସର୍ବତ୍ର ପ୍ରଚାର କଲେ, ଆଉ ପ୍ରଭୁ ସେମାନଙ୍କର ସହକର୍ମୀ ହୋଇ ଅନୁବର୍ତ୍ତୀ ଚିହ୍ନଗୁଡ଼ିକ ଦ୍ୱାରା ସେହି ବାକ୍ୟ ପ୍ରମାଣସିଦ୍ଧ କଲେ।]
ପତ୍ର
1ଅତଏବ, ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେବାରୁ ଆମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ସହିତ ଶାନ୍ତିରେ ଅଛୁ; 2ଯେଉଁ ଅନୁଗ୍ରହର ଅବସ୍ଥା ମଧ୍ୟରେ ଆମ୍ଭେମାନେ ଅଛୁ, ସେଥିରେ ତାହାଙ୍କ ଦ୍ୱାରା ବିଶ୍ୱାସରେ ପ୍ରବେଶ ମଧ୍ୟ କରିଅଛୁ; ପୁଣି, ଆମ୍ଭେମାନେ ଈଶ୍ବରଙ୍କ ଗୌରବର ଭରସାରେ ଦର୍ପ କରୁଅଛୁ। 3କେବଳ ତାହା ନୁହେଁ, ସମସ୍ତ କ୍ଳେଶରେ ମଧ୍ୟ ଦର୍ପ କରୁଅଛୁ, ଯେଣୁ କ୍ଳେଶରୁ ଧୈର୍ଯ୍ୟ, ଧୈର୍ଯ୍ୟରୁ ଅନୁଭୂତି, 4ପୁଣି, ଅନୁଭୂତିରୁ ଭରସା ଯେ ଜନ୍ମେ, ଏହା ଆମ୍ଭେମାନେ ଜାଣୁ। 5ଆଉ, ଭରସା ଲଜ୍ଜା ଦିଏ ନାହିଁ, କାରଣ ଆମ୍ଭମାନଙ୍କୁ ପ୍ରଦତ୍ତ ପବିତ୍ର ଆତ୍ମାଙ୍କ ଦ୍ୱାରା ଆମ୍ଭମାନଙ୍କ ହୃଦୟରେ ଈଶ୍ବରଙ୍କ ପ୍ରେମ ପ୍ରବାହିତ ହୋଇଅଛି। 6କାରଣ ଯେତେବେଳେ ଆମ୍ଭେମାନେ ନିରୂପାୟ ଥିଲୁ, ସେତେବେଳେ ଖ୍ରୀଷ୍ଟ ଉପଯୁକ୍ତ ସମୟରେ ଅଧାର୍ମିକମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ। 7ଧାର୍ମିକ ଲୋକ ନିମନ୍ତେ ପ୍ରାୟ କେହି ମୃତ୍ୟୁଭୋଗ କରିବ ନାହିଁ, ଉତ୍ତମ ଲୋକ ନିମନ୍ତେ ଅବା କେହି ପ୍ରାଣ ଦେବାକୁ ସାହସ କରିପାରେ। 8କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ବର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି। 9ଅତଏବ, ଏହା ଆହୁରି ସୁନିଶ୍ଚିତ ଯେ, ଆମ୍ଭେମାନେ ଏବେ ତାହାଙ୍କ ରକ୍ତ ଦ୍ୱାରା ଧାର୍ମିକ ଗଣିତ ହେବାରୁ ତାହାଙ୍କ ଦ୍ୱାରା ଈଶ୍ବରଙ୍କ କ୍ରୋଧରୁ ରକ୍ଷା ପାଇବା। 10କାରଣ ଆମ୍ଭେମାନେ ଶତ୍ରୁ ଥିବା ସମୟରେ ଯଦି ଈଶ୍ବରଙ୍କ ସହିତ ତାହାଙ୍କ ପୁତ୍ରଙ୍କ ମୃତ୍ୟୁ ଦ୍ୱାରା ମିଳିତ ହେଲୁ, ତାହାହେଲେ, ଆମ୍ଭେମାନେ ମିଳିତ ହୋଇ ତାହାଙ୍କ ଜୀବନ ଦ୍ୱାରା ନିଶ୍ଚୟ ପରିତ୍ରାଣ ପାଇବା।
ସୁସମାଚାର
22ଚକ୍ଷୁ ଶରୀରର ପ୍ରଦୀପ। ଏଣୁ ତୁମ୍ଭର ଚକ୍ଷୁ ଯେବେ ନିର୍ମଳ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଆଲୋକମୟ ହେବ। 23କିନ୍ତୁ ତୁମ୍ଭର ଚକ୍ଷୁ ଯେବେ ଦୂଷିତ ଥାଏ, ତେବେ ତୁମ୍ଭର ସମସ୍ତ ଶରୀର ଅନ୍ଧକାରମୟ ହେବ। ଅତଏବ ତୁମ୍ଭ ଅନ୍ତରସ୍ଥ ଜ୍ୟୋତିଃ ଯେବେ ଅନ୍ଧକାର ହୁଏ, ତେବେ ସେ ଅନ୍ଧକାର କେଡ଼େ ଘୋରତର! 24କୌଣସି ଲୋକ ଦୁଇ ପ୍ରଭୁଙ୍କର ଦାସ ହୋଇପାରେ ନାହିଁ; କାରଣ ସେ ଜଣଙ୍କୁ ଘୃଣା କରିବ ଓ ଅନ୍ୟ ଜଣକୁ ପ୍ରେମ କରିବ, ଅଥବା ଜଣଙ୍କ ପ୍ରତି ଅନୁରକ୍ତ ହେବ ଓ ଅନ୍ୟ ଜଣଙ୍କୁ ଅବଜ୍ଞା କରିବ। ତୁମ୍ଭେମାନେ ଈଶ୍ବର ଓ ଧନ ଉଭୟର ଦାସ ହୋଇପାର ନାହିଁ। 25ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଜୀବନ ନିମନ୍ତେ କଅଣ ଖାଇବ ବା କଅଣ ପିଇବ, କିଅବା କଅଣ ପିନ୍ଧିବ, ଏଭଳି ତୁମ୍ଭମାନଙ୍କ ଶରୀର ନିମନ୍ତେ ମଧ୍ୟ ଚିନ୍ତା କର ନାହିଁ। ଖାଦ୍ୟ ଅପେକ୍ଷା ଜୀବନ ଓ ବସ୍ତ୍ର ଅପେକ୍ଷା ଶରୀର କି ଶ୍ରେଷ୍ଠ ନୁହେଁ? 26ଆକାଶର ପକ୍ଷୀମାନଙ୍କୁ ଦେଖ, ସେମାନେ ବୁଣନ୍ତି ନାହିଁ କି କାଟନ୍ତି ନାହିଁ କିଅବା ଅମାରରେ ସଞ୍ଚୟ କରନ୍ତି ନାହିଁ, ଆଉ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ସେମାନଙ୍କୁ ଖାଦ୍ୟ ଦିଅନ୍ତି। ତୁମ୍ଭେମାନେ କଅଣ ସେମାନଙ୍କଠାରୁ ଶ୍ରେଷ୍ଠ ନୁହଁ? 27ପୁଣି, ତୁମ୍ଭମାନଙ୍କ ମଧ୍ୟରେ କିଏ ଚିନ୍ତା କରି କରି ଆପଣା ଆୟୁଷର ଗୋଟିଏ ମୁହୂର୍ତ୍ତ ମଧ୍ୟ ବୃଦ୍ଧି କରିପାରେ? 28ଆଉ ବସ୍ତ୍ର ନିମନ୍ତେ କାହିଁକି ଚିନ୍ତା କରୁଅଛ? କ୍ଷେତ୍ରର ପୁଷ୍ପଗୁଡ଼ିକ ବିଷୟରେ ଭାବି ଶିକ୍ଷା ଗ୍ରହଣ କର, ସେଗୁଡ଼ିକ କିପରି ବଢ଼ନ୍ତି; ସେ ସବୁ ପରିଶ୍ରମ କରନ୍ତି ନାହିଁ, କିମ୍ବା ସୂତା କାଟନ୍ତି ନାହିଁ, 29ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ଶଲୋମନ ସୁଦ୍ଧା ଆପଣାର ସମସ୍ତ ଐଶ୍ୱର୍ଯ୍ୟରେ ଏଗୁଡ଼ିକ ମଧ୍ୟରୁ ଗୋଟିକ ପରି ବିଭୂଷିତ ନ ଥିଲେ। 30କିନ୍ତୁ କ୍ଷେତର ଯେଉଁ ଘାସ ଆଜି ଅଛି, ଆଉ କାଲି ଚୁଲିରେ ପକାଯାଏ, ତାହାକୁ ଯେବେ ଈଶ୍ବର ଏପ୍ରକାର ବେଶ ଦିଅନ୍ତି, ତେବେ, ହେ ଅଳ୍ପ ବିଶ୍ୱାସୀମାନେ, ସେ ତୁମ୍ଭମାନଙ୍କୁ କି ଅଧିକ ନିଶ୍ଚିତରୂପେ ବସ୍ତ୍ର ନ ଦେବେ? 31ଏଣୁ କଅଣ ଖାଇବା? ଅବା କଅଣ ପିଇବା? କିଅବା କଅଣ ପିନ୍ଧିବା? ଏହା କହି ଚିନ୍ତିତ ହୁଅ ନାହିଁ। 32କାରଣ ଅଣଯିହୁଦୀମାନେ ଏହିସବୁ ବିଷୟ ଖୋଜି ବୁଲନ୍ତି। ଆଉ ଏହି ସମସ୍ତ ବିଷୟ ଯେ ତୁମ୍ଭମାନଙ୍କର ଆବଶ୍ୟକ, ତାହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତା ଜାଣନ୍ତି। 33କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁନ 28 ନାଗରିକ ପଞ୍ଜିକାର ଜୁଲାଇ 11। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର