Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଜୁଲାଇ 2027 › ଜୁଲାଇ 25

ଅର୍ଥୋଡକ୍ସ ପଞ୍ଜିକା · 12 ଜୁଲାଇ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 25 ଜୁଲାଇ 2027

ରବିବାର · ସ୍ୱର 4

ପର୍ବ ଓ ସନ୍ଥ

ପେଣ୍ଟିକଷ୍ଟ ପରେ ପଞ୍ଚମ ରବିବାର

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପ୍ରଭାତୀ ପ୍ରାର୍ଥନାର ପଞ୍ଚମ ସୁସମାଚାର

ଲୂକ 24:12–35

12[କିନ୍ତୁ ପିତର ଉଠି ସମାଧି ନିକଟକୁ ଦୌଡ଼ିଗଲେ ପୁଣି, ନଇଁପଡ଼ି ଚାହିଁ କେବଳ ସୂକ୍ଷ୍ମ ବସ୍ତ୍ରସବୁ ଦେଖିଲେ, ଆଉ ସେ ସେହି ଘଟଣା ବିଷୟରେ ଚମତ୍କୃତ ହୋଇ ଆପଣା ଘରକୁ ଚାଲିଗଲେ।] 13ଆଉ ଦେଖ, ସେହି ଦିନ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଯିରୂଶାଲମଠାରୁ ପ୍ରାୟ ସାତ ମାଇଲ୍ ଦୂରବର୍ତ୍ତୀ ଇମ୍ମାୟୁ ଗ୍ରାମକୁ ଯାଉଥିଲେ 14ଓ ଏହି ସମସ୍ତ ଘଟଣା ବିଷୟରେ ପରସ୍ପର କଥାବାର୍ତ୍ତା କରୁଥିଲେ। 15ସେମାନେ କଥାବାର୍ତ୍ତା ଓ ବାଦାନୁବାଦ କରୁଥିବା ସମୟରେ ଯୀଶୁ ଆପେ ସେମାନଙ୍କ ନିକଟକୁ ଆସି ସେମାନଙ୍କ ସଙ୍ଗେ ସଙ୍ଗେ ଗମନ କରିବାକୁ ଲାଗିଲେ; 16କିନ୍ତୁ ସେମାନଙ୍କର ଚକ୍ଷୁ ଏପରି ରୁଦ୍ଧ ହୋଇଥିଲା ଯେ, ସେମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ। 17ସେ ସେମାନଙ୍କୁ ପଚାରିଲେ, “ତୁମ୍ଭେମାନେ ଚାଲୁ ଚାଲୁ ଯେଉଁ ସମସ୍ତ ବିଷୟ ପରସ୍ପର କଥାବାର୍ତ୍ତା କରୁଅଛ, ସେ ସବୁ କଅଣ?” ସେଥିରେ ସେମାନେ ବିଷଣ୍ଣ ମୁଖରେ ଠିଆ ହୋଇ ରହିଲେ। 18ଆଉ ସେମାନଙ୍କ ମଧ୍ୟରୁ କ୍ଲେୟପା ନାମକ ଜଣେ ତାହାଙ୍କୁ ଉତ୍ତର ଦେଲେ, ଯିରୂଶାଲମସ୍ଥ ପ୍ରବାସୀମାନଙ୍କ ମଧ୍ୟରୁ ଆପଣ କଅଣ ଏକାକୀ ସେ ସ୍ଥାନର ଏ କେତେକ ଦିନର ଘଟଣା ଜାଣନ୍ତି ନାହିଁ? 19ସେ ସେମାନଙ୍କୁ ପଚାରିଲେ, “କି କି ପ୍ରକାର ଘଟଣା?” ସେମାନେ ତାହାଙ୍କୁ କହିଲେ, ନାଜରିତୀୟ ଯୀଶୁଙ୍କ ବିଷୟ; ସେ ଈଶ୍ବର ଓ ସମସ୍ତ ଲୋକଙ୍କ ଦୃଷ୍ଟିରେ କର୍ମରେ ଓ ବାକ୍ୟରେ ଜଣେ ଶକ୍ତିଶାଳୀ ଭାବବାଦୀ ଥିଲେ, 20ଆଉ, ଆମ୍ଭମାନଙ୍କର ପ୍ରଧାନ ଯାଜକ ଓ ଅଧ୍ୟକ୍ଷମାନେ କିପରି ତାହାଙ୍କୁ ପ୍ରାଣଦଣ୍ଡ ଭୋଗିବାକୁ ସମର୍ପଣ କରି ତାହାଙ୍କୁ କ୍ରୁଶରେ ବଧ କଲେ, ଏହି ସମସ୍ତ ବିଷୟ। 21କିନ୍ତୁ ଯେ ଇସ୍ରାଏଲକୁ ମୁକ୍ତ କରିବେ, ସେ ଯେ ଏହି ବ୍ୟକ୍ତି, ତାହା ଆମ୍ଭେମାନେ ଆଶା କରିଥିଲୁ; ମାତ୍ର ଏହା ଛଡ଼ା ଏସମସ୍ତ ଘଟିବାର ଆଜିକି ତିନି ଦିନ ହେଲା। 22ଆହୁରି ମଧ୍ୟ ଆମ୍ଭମାନଙ୍କ ମଧ୍ୟରୁ କେତେକ ସ୍ତ୍ରୀଲୋକ ଆମ୍ଭମାନଙ୍କୁ ଆଚମ୍ଭିତ କରିଅଛନ୍ତି; ସେମାନେ ପ୍ରତ୍ୟୁଷରେ ସମାଧି ନିକଟକୁ ଯାଇଥିଲେ 23ଆଉ, ତାହାଙ୍କ ଶରୀର ନ ପାଇ ଆସି କହିଲେ ଯେ, ସେମାନେ ଦୂତମାନଙ୍କର ଦର୍ଶନ ମଧ୍ୟ ପାଇଅଛନ୍ତି ଓ ସେହି ଦୂତମାନେ କହିଲେ ଯେ, ସେ ଜୀବିତ ଅଛନ୍ତି। 24ଆଉ, ଆମ୍ଭମାନଙ୍କ ସଙ୍ଗୀମାନଙ୍କ ମଧ୍ୟରୁ କେହି କେହି ସମାଧି ନିକଟକୁ ଯାଇ, ସ୍ତ୍ରୀଲୋକମାନେ ଯେପରି କହିଥିଲେ, ସେପରି ଦେଖିଲେ, କିନ୍ତୁ ଯୀଶୁଙ୍କୁ ଦେଖିଲେ ନାହିଁ। 25ସେଥିରେ ସେ ସେମାନଙ୍କୁ କହିଲେ, “ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ୱାରା କଥିତ ସମସ୍ତ ବାକ୍ୟରେ ବିଶ୍ୱାସ କରିବାକୁ ଶିଥିଳଚିତ୍ତମାନେ, 26ଏହି ସମସ୍ତ ଦୁଃଖଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କଅଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା?” 27ପୁଣି, ମୋଶା ଓ ସମସ୍ତ ଭାବବାଦୀଙ୍କଠାରୁ ଆରମ୍ଭ କରି ସମସ୍ତ ଧର୍ମଶାସ୍ତ୍ରରେ ଆପଣା ସମ୍ବନ୍ଧୀୟ କଥା ସେ ସେମାନଙ୍କୁ ବୁଝାଇଦେଲେ। 28ଆଉ ସେମାନେ ଯେଉଁ ଗ୍ରାମକୁ ଯାଉଥିଲେ, ସେଥିର ନିକଟବର୍ତ୍ତୀ ହୁଅନ୍ତେ ସେ ଆହୁରି ଆଗକୁ ଯିବାର ଭାବ ଦେଖାଇଲେ। 29କିନ୍ତୁ ସେମାନେ ତାହାଙ୍କୁ ବଳାଇ କହିଲେ, ଆମ୍ଭମାନଙ୍କ ସାଙ୍ଗରେ ରହନ୍ତୁ, କାରଣ ସନ୍ଧ୍ୟା ହୋଇ ଆସୁଅଛି ଓ ବେଳ ଗଡ଼ିଗଲାଣି। ସେଥିରେ ସେ ସେମାନଙ୍କ ସହିତ ରହିବାକୁ ଘର ଭିତରକୁ ଗଲେ। 30ଆଉ ସେମାନଙ୍କ ସହିତ ଭୋଜନରେ ବସିଲା ଉତ୍ତାରେ ସେ ରୁଟି ଘେନି ଆଶୀର୍ବାଦ କଲେ, ପୁଣି, ତାହା ଭାଙ୍ଗି ସେମାନଙ୍କୁ ଦେବାକୁ ଲାଗିଲେ। 31ତହିଁରେ ସେମାନଙ୍କ ଚକ୍ଷୁ ଉନ୍ମୁକ୍ତ ହେଲା ଓ ସେମାନେ ତାହାଙ୍କୁ ଚିହ୍ନିଲେ; ଆଉ ସେ ସେମାନଙ୍କ ଦୃଷ୍ଟିରୁ ଅନ୍ତର୍ହିତ ହେଲେ। 32ସେଥିରେ ସେମାନେ ପରସ୍ପର କହିଲେ, ଯେତେବେଳେ ପଥ ମଧ୍ୟରେ ସେ ଆମ୍ଭମାନଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିଲେ ଓ ଆମ୍ଭମାନଙ୍କୁ ଧର୍ମଶାସ୍ତ୍ର ବୁଝାଉଥିଲେ, ସେତେବେଳେ କଅଣ ଆମ୍ଭମାନଙ୍କ ହୃଦୟ ଉତ୍ତପ୍ତ ହେଉ ନ ଥିଲା? 33ଆଉ ସେମାନେ ସେହି ଦଣ୍ଡରେ ଉଠି ଯିରୂଶାଲମ ସହରକୁ ବାହୁଡ଼ିଯାଇ ସମବେତ ହୋଇଥିବା ଏକାଦଶ ଶିଷ୍ୟମାନଙ୍କୁ ଓ ସେମାନଙ୍କ ସଙ୍ଗୀମାନଙ୍କୁ ଦେଖିଲେ; 34ସେମାନେ କହୁଥିଲେ ପ୍ରଭୁ ନିଶ୍ଚୟ ଉଠିଅଛନ୍ତି ଓ ଶିମୋନଙ୍କୁ ଦର୍ଶନ ଦେଇଅଛନ୍ତି। 35ଆଉ ସେମାନେ ମଧ୍ୟ ବାଟର ସମସ୍ତ ଘଟଣା ଓ ରୁଟି ଭାଙ୍ଗିବାରେ ସେ କିପରି ସେମାନଙ୍କ ଦ୍ୱାରା ଚିହ୍ନାଗଲେ, ସେହିସବୁ ବର୍ଣ୍ଣନା କରିବାକୁ ଲାଗିଲେ।

ପତ୍ର

ରୋମୀ 10:1–10

1ହେ ଭାଇମାନେ, ସେମାନେ ଯେପରି ପରିତ୍ରାଣ ପାଆନ୍ତି, ଏହା ମୋହର ହୃଦୟର ବାଞ୍ଛା ଏବଂ ସେମାନଙ୍କ ନିମନ୍ତେ ଈଶ୍ବରଙ୍କ ଛାମୁରେ ମୋହର ପ୍ରାର୍ଥନା। 2କାରଣ ଈଶ୍ବରଙ୍କ ବିଷୟରେ ଯେ ସେମାନଙ୍କର ଉଦ୍‌ଯୋଗ ଅଛି, ଏହା ମୁଁ ସେମାନଙ୍କ ସପକ୍ଷରେ ସାକ୍ଷ୍ୟ ଦେଉଅଛି, କିନ୍ତୁ ସେହି ଉଦ୍‍ଯୋଗ ଜ୍ଞାନଯୁକ୍ତ ନୁହେଁ। 3ଯେଣୁ ଈଶ୍ବରଦତ୍ତ ଧାର୍ମିକତା ବିଷୟରେ ଅଜ୍ଞ ହୋଇ ଓ ଆପଣା ଆପଣା ଧାର୍ମିକତା ସ୍ଥାପନ କରିବାକୁ ଚେଷ୍ଟା କରି ସେମାନେ ଈଶ୍ବରଦତ୍ତ ଧାର୍ମିକତାର ବଶୀଭୂତ ହୋଇ ନାହାନ୍ତି। 4କାରଣ ପ୍ରତ୍ୟେକ ବିଶ୍ୱାସୀ ପକ୍ଷରେ ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟ ବ୍ୟବସ୍ଥାର ଶେଷ ଅଟନ୍ତି। 5କାରଣ ମୋଶା ଲେଖନ୍ତି, ଯେଉଁ ମନୁଷ୍ୟ ବ୍ୟବସ୍ଥାମୂଳକ ଧାର୍ମିକତା ସାଧନ କରେ, ସେ ତଦ୍ୱାରା ବଞ୍ଚିବ। 6କିନ୍ତୁ ବିଶ୍ୱାସମୂଳକ ଧାର୍ମିକତା ଏପରି କହେ, “ମନେ ମନେ କୁହ ନାହିଁ, କିଏ ସ୍ୱର୍ଗାରୋହଣ କରିବ (ଅର୍ଥାତ୍‍, ଖ୍ରୀଷ୍ଟଙ୍କୁ ଓହ୍ଲାଇ ଆଣିବା ନିମନ୍ତେ)?” 7“ଅବା ‘କିଏ ପାତାଳକୁ ଅବତରଣ କରିବ’” (ଅର୍ଥାତ୍‍, ଖ୍ରୀଷ୍ଟଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଆଣିବା ନିମନ୍ତେ)? 8କିନ୍ତୁ ତାହା କଅଣ କହେ? “ବାକ୍ୟ ତୁମ୍ଭର ନିକଟବର୍ତ୍ତୀ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛି,” ଅର୍ଥାତ୍‍ ଯେଉଁ ବିଶ୍ୱାସ ସମ୍ବନ୍ଧୀୟ ବାକ୍ୟ ଆମ୍ଭେମାନେ ପ୍ରଚାର କରୁ, ସେହି ବାକ୍ୟ। 9ଯେଣୁ ତୁମ୍ଭେ ଯଦି ମୁଖରେ ଯୀଶୁଙ୍କୁ ପ୍ରଭୁ ବୋଲି ସ୍ୱୀକାର କରିବ, ଆଉ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି ବୋଲି ହୃଦୟରେ ବିଶ୍ୱାସ କରିବ, ତେବେ ପରିତ୍ରାଣ ପ୍ରାପ୍ତ ହେବ; 10କାରଣ ଧାର୍ମିକତାପ୍ରାପ୍ତି ନିମନ୍ତେ ମନୁଷ୍ୟ ହୃଦୟରେ ବିଶ୍ୱାସ କରେ ଓ ପରିତ୍ରାଣ ପ୍ରାପ୍ତି ନିମନ୍ତେ ମୁଖରେ ସ୍ୱୀକାର କରେ।

ସୁସମାଚାର

ମାଥି 8:28–9:1

28ପରେ ଆରପାରିରେ ଗଦରୀୟମାନଙ୍କ ଅଞ୍ଚଳରେ ଯୀଶୁ ଉପସ୍ଥିତ ହୁଅନ୍ତେ ଦୁଇ ଜଣ ଭୂତଗ୍ରସ୍ତ ସମାଧି-ସ୍ଥାନରୁ ବାହାରି ତାହାଙ୍କୁ ଭେଟିଲେ। ସେମାନେ ଏପରି ଦୁର୍ଦ୍ଦାନ୍ତ ଥିଲେ ଯେ, ସେହି ବାଟ ଦେଇ କେହି ଯିବା ଆସିବା କରିପାରୁ ନ ଥିଲେ। 29ଆଉ ଦେଖ, ସେମାନେ ଚିତ୍କାର କରି କହିଲେ, ହେ ଈଶ୍ବରଙ୍କ ପୁତ୍ର, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କ କଅଣ ଅଛି? ସମୟ ନ ହେଉଣୁ ତୁମ୍ଭେ କି ଆମ୍ଭମାନଙ୍କୁ ଯନ୍ତ୍ରଣା ଦେବା ପାଇଁ ଏଠାକୁ ଆସିଲ? 30ଆଉ ସେମାନଙ୍କଠାରୁ ଦୂରରେ ଗୋଟିଏ ବଡ଼ ଘୁଷୁରିପଲ ଚରୁଥିଲା। 31ଏଥିରେ ଭୂତଗୁଡ଼ାକ ତାହାଙ୍କୁ ବିନତି କରି କହିବାକୁ ଲାଗିଲେ, ଯେବେ ଆମ୍ଭମାନଙ୍କୁ ଛଡ଼ାଅ, ତେବେ ଘୁଷୁରିପଲ ଭିତରକୁ ପଠାଇଦିଅ। 32ଯୀଶୁ ସେମାନଙ୍କୁ କହିଲେ, “ଯାଅ।” ସେଥିରେ ସେମାନେ ବାହାରି ଘୁଷୁରିଗୁଡ଼ାକ ଭିତରେ ପଶିଲେ; ଆଉ ଦେଖ, ଘୁଷୁରିପଲ ଅତି ବେଗରେ ଦୌଡ଼ିଯାଇ ତୀଖସ୍ଥାନ ଦେଇ ସମୁଦ୍ରରେ ପଡ଼ି ବୁଡ଼ି ମଲେ। 33ପୁଣି, ଚରାଉଥିବା ଲୋକମାନେ ପଳାଇଗଲେ ଏବଂ ନଗରକୁ ଯାଇ ସମସ୍ତ ଘଟଣା ଓ ଭୂତଗ୍ରସ୍ତ ଲୋକଙ୍କ ପ୍ରତି ଯାହା ଯାହା ଘଟିଥିଲା, ସେହିସବୁ ଜଣାଇଲେ। 34ଆଉ ଦେଖ, ନଗରର ସମସ୍ତ ଲୋକ ଯୀଶୁଙ୍କୁ ଭେଟିବା ପାଇଁ ବାହାରି ଆସିଲେ, ପୁଣି, ତାହାଙ୍କୁ ଦେଖି ସେମାନଙ୍କ ସୀମାରୁ ଚାଲିଯିବା ପାଇଁ ବିନତି କଲେ। 9:1ସେଥିରେ ଯୀଶୁ ନୌକାରେ ଚଢ଼ି ପାରି ହେଲେ ଓ ନିଜ ନଗରକୁ ଆସିଲେ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁଲାଇ 12 ନାଗରିକ ପଞ୍ଜିକାର ଜୁଲାଇ 25। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର