ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 1
ଅର୍ଥୋଡକ୍ସ ପଞ୍ଜିକା · 19 ଜୁଲାଇ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 1 ଅଗଷ୍ଟ 2027
ରବିବାର · ସ୍ୱର 5
ପର୍ବ ଓ ସନ୍ଥ
ପେଣ୍ଟିକଷ୍ଟ ପରେ ଷଷ୍ଠ ରବିବାର
ପ୍ରଥମ ଛଅ ବିଶ୍ୱବ୍ୟାପୀ ମହାସଭାର ପିତୃଗଣ
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ସନ୍ଧ୍ୟା ପ୍ରାର୍ଥନା: ପାଠ (ପିତୃଗଣଙ୍କ ପାଇଁ)
14ସେତେବେଳେ ଅବ୍ରାମ ଆପଣା ଜ୍ଞାତି ଧରା ହୋଇ ଯିବାର ସମାଚାର ଶୁଣିବା ମାତ୍ରକେ (ଯୁଦ୍ଧ ବିଦ୍ୟାରେ) ଶିକ୍ଷିତ ଆପଣା ଗୃହଜାତ ତିନି ଶହ ଅଠର ଜଣ ଲୋକଙ୍କୁ ସଙ୍ଗରେ ଘେନି ଶତ୍ରୁଗଣର ପଛେ ପଛେ ଦୌଡ଼ି ଦାନ୍ ନଗର ପର୍ଯ୍ୟନ୍ତ ଗଲେ। 15ଏଥିଉତ୍ତାରେ ସେ ଆପଣା ଦାସମାନଙ୍କୁ ଦୁଇ ଦଳ କରି ରାତ୍ରିକାଳରେ ଶତ୍ରୁମାନଙ୍କୁ ଆକ୍ରମଣ କଲେ, ପୁଣି, ଦମ୍ମେଶକର ଉତ୍ତରସ୍ଥିତ ହୋବା ପର୍ଯ୍ୟନ୍ତ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ। 16ଆଉ, ସବୁ ସମ୍ପତ୍ତି ଓ ଆପଣାର ଜ୍ଞାତି ଲୋଟ ଓ ତାଙ୍କର ସମ୍ପତ୍ତି, ପୁଣି, ସ୍ତ୍ରୀଗଣ ଓ ଲୋକସମୂହକୁ ବାହୁଡ଼ାଇ ଆଣିଲେ। 17ଏହିରୂପେ ଅବ୍ରାମ କଦର୍ଲାୟୋମରକୁ ଓ ତାଙ୍କର ସହାୟ ରାଜାଗଣକୁ ଜୟ କରି ବାହୁଡ଼ିଲା ଉତ୍ତାରେ, ସଦୋମର ରାଜା ତାଙ୍କ ସହିତ ସାକ୍ଷାତ କରିବାକୁ ଶାବୀ ପଦା, ଅର୍ଥାତ୍, ରାଜାର ପଦାକୁ ଗମନ କଲେ। 18ପୁଣି, ଶାଲେମ୍ର ରାଜା ମଲ୍କୀଷେଦକ ରୁଟି ଓ ଦ୍ରାକ୍ଷାରସ ଘେନି ଆସିଲେ; ସେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଯାଜକ; 19ସେ ଅବ୍ରାମଙ୍କୁ ଆଶୀର୍ବାଦ କରି କହିଲେ, “ଅବ୍ରାମ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଆଶୀର୍ବାଦ-ପାତ୍ର ହେଉନ୍ତୁ; 20ସର୍ବୋପରିସ୍ଥ ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ତୁମ୍ଭର ଶତ୍ରୁଗଣଙ୍କୁ ତୁମ୍ଭ ହସ୍ତରେ ସମର୍ପଣ କଲେ।” ସେତେବେଳେ (ଅବ୍ରାମ) ସବୁ ଦ୍ରବ୍ୟର ଦଶମାଂଶ ତାଙ୍କୁ ଦେଲେ।
ସନ୍ଧ୍ୟା ପ୍ରାର୍ଥନା: ପାଠ (ପିତୃଗଣଙ୍କ ପାଇଁ)
8ଦେଖ, ଆମ୍ଭେ ତୁମ୍ଭମାନଙ୍କ ଆଗରେ ଏହି ଦେଶ ସମର୍ପଣ କରିଅଛୁ; ସଦାପ୍ରଭୁ ତୁମ୍ଭମାନଙ୍କର ପୂର୍ବପୁରୁଷ ଅବ୍ରହାମଙ୍କୁ ଓ ଇସ୍ହାକକୁ ଓ ଯାକୁବକୁ ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଥିଲେ, ତୁମ୍ଭେମାନେ ସେହି ଦେଶକୁ ଯାଇ ତାହା ଅଧିକାର କର।’” 9ପୁଣି ସେସମୟରେ ମୁଁ ତୁମ୍ଭମାନଙ୍କୁ କହିଲି, “ମୁଁ ଏକାକୀ ତୁମ୍ଭମାନଙ୍କ ଭାର ବହିବାକୁ ଅସମର୍ଥ; 10ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ତୁମ୍ଭମାନଙ୍କୁ ବୃଦ୍ଧି କରିଅଛନ୍ତି, ଏଣୁ ଦେଖ, ତୁମ୍ଭେମାନେ ଆଜି ଆକାଶର ତାରାଗଣ ତୁଲ୍ୟ ବହୁସଂଖ୍ୟକ ହୋଇଅଛ। 11ତୁମ୍ଭେମାନେ ଏବେ ଯେତେ ଅଛ, ସଦାପ୍ରଭୁ ତୁମ୍ଭମାନଙ୍କ ପୈତୃକ ପରମେଶ୍ୱର ତୁମ୍ଭମାନଙ୍କୁ ତହିଁର ସହସ୍ର ଗୁଣ କରନ୍ତୁ ଓ ସେ ଯେରୂପ ତୁମ୍ଭମାନଙ୍କୁ ପ୍ରତିଜ୍ଞା କରିଅଛନ୍ତି, ତଦ୍ରୂପ ତୁମ୍ଭମାନଙ୍କୁ ଆଶୀର୍ବାଦ କରନ୍ତୁ। 15ତହୁଁ ମୁଁ ତୁମ୍ଭମାନଙ୍କ ବଂଶ ଅନୁସାରେ ପ୍ରଧାନ, ଜ୍ଞାନୀ ଓ ବିଖ୍ୟାତ ଲୋକମାନଙ୍କୁ ନେଇ ତୁମ୍ଭମାନଙ୍କ ବଂଶାନୁସାରେ ତୁମ୍ଭମାନଙ୍କ ଉପରେ ପ୍ରଧାନ, ସହସ୍ରପତି, ଶତପତି, ପଚାଶପତି, ଦଶପତି ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କଲି। 16ପୁଣି ମୁଁ ସେସମୟରେ ତୁମ୍ଭମାନଙ୍କର ବିଚାରକର୍ତ୍ତୃଗଣକୁ ଆଜ୍ଞା ଦେଇ କହିଲି, “ତୁମ୍ଭେମାନେ ଆପଣା ଆପଣା ଭାଇମାନଙ୍କ ମଧ୍ୟରେ ବିବାଦ ଶୁଣ, ପୁଣି ମନୁଷ୍ୟ ଓ ତାହାର ଭାଇ ଓ ତାହାର ସହବାସୀ ବିଦେଶୀ ମଧ୍ୟରେ ଯଥାର୍ଥ ବିଚାର କର। 17ତୁମ୍ଭେମାନେ ବିଚାରରେ କାହାରି ମୁଖାପେକ୍ଷା କରିବ ନାହିଁ; ତୁମ୍ଭେମାନେ ସାନ ଓ ବଡ଼ ଲୋକର କଥା ସମଭାବରେ ଶୁଣିବ; ତୁମ୍ଭେମାନେ ମନୁଷ୍ୟର ମୁଖକୁ ଭୟ କରିବ ନାହିଁ; କାରଣ ବିଚାର ପରମେଶ୍ୱରଙ୍କର ଅଟେ; ପୁଣି ଯେଉଁ କଥା ତୁମ୍ଭମାନଙ୍କ ପ୍ରତି କଠିନ ହୁଏ, ତାହା ତୁମ୍ଭେମାନେ ମୋʼ ନିକଟକୁ ଆଣିବ, ମୁଁ ତାହା ଶୁଣିବି।”
ସନ୍ଧ୍ୟା ପ୍ରାର୍ଥନା: ପାଠ (ପିତୃଗଣଙ୍କ ପାଇଁ)
14ଦେଖ, ଆକାଶମଣ୍ଡଳ ଓ ତହିଁ ଉପରିସ୍ଥ ସ୍ୱର୍ଗ, ପୁଣି ପୃଥିବୀ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଅଟେ। 15କେବଳ ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ସ୍ନେହ କରିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆଜି ଦିନ ପରି ସେ ସର୍ବଗୋଷ୍ଠୀୟ ଲୋକମାନଙ୍କଠାରୁ ମନୋନୀତ କଲେ। 16ଏଥିପାଇଁ ତୁମ୍ଭେମାନେ ଆପଣା ଆପଣା ହୃଦୟର ଅଗ୍ରଚର୍ମ ସୁନ୍ନତ କର, ଆଉ ଶକ୍ତଗ୍ରୀବ ହୁଅ ନାହିଁ। 17କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଦେବଗଣର ଦେବ, ପ୍ରଭୁମାନଙ୍କର ପ୍ରଭୁ, ମହାନ, ସର୍ବଶକ୍ତିମାନ ଓ ଭୟଙ୍କର ପରମେଶ୍ୱର ଅଟନ୍ତି, ସେ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, କିଅବା ଲାଞ୍ଚ ଗ୍ରହଣ କରନ୍ତି ନାହିଁ। 18ସେ ପିତୃହୀନ, ବିଧବାର ବିଚାର ନିଷ୍ପତ୍ତି କରନ୍ତି ଓ ବିଦେଶୀକୁ ଅନ୍ନ ଓ ବସ୍ତ୍ର ଦେଇ ପ୍ରେମ କରନ୍ତି। 19ଏଥିପାଇଁ ତୁମ୍ଭେମାନେ ବିଦେଶୀକୁ ପ୍ରେମ କର, କାରଣ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ। 20ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଭୟ କରିବ; ତାହାଙ୍କର ତୁମ୍ଭେ ସେବା କରିବ ଓ ତାହାଙ୍କଠାରେ ତୁମ୍ଭେ ଆସକ୍ତ ହେବ, ପୁଣି ତାହାଙ୍କ ନାମରେ ତୁମ୍ଭେ ଶପଥ କରିବ। 21ସେ ତୁମ୍ଭର ପ୍ରଶଂସାର ଯୋଗ୍ୟ, ପୁଣି ସେ ତୁମ୍ଭର ପରମେଶ୍ୱର ଅଟନ୍ତି, ତୁମ୍ଭର ଚକ୍ଷୁ ଯାହା ଯାହା ଦେଖିଅଛି, ସେହି ସବୁ ମହତ୍ ଓ ଭୟଙ୍କର କର୍ମ ସେ ତୁମ୍ଭ ନିମନ୍ତେ କରିଅଛନ୍ତି।
ସନ୍ଧ୍ୟା ପ୍ରାର୍ଥନା: ପାଠ
ଏହି ଅନୁବାଦରେ ନାହିଁ
ସନ୍ଧ୍ୟା ପ୍ରାର୍ଥନା: ପାଠ
ଏହି ଅନୁବାଦରେ ନାହିଁ
ସନ୍ଧ୍ୟା ପ୍ରାର୍ଥନା: ପାଠ
ଏହି ଅନୁବାଦରେ ନାହିଁ
ପ୍ରଭାତୀ ପ୍ରାର୍ଥନାର ଷଷ୍ଠ ସୁସମାଚାର
36କିନ୍ତୁ ସେମାନେ ଏହିସବୁ କଥା କହୁଥିବା ସମୟରେ ସେ ଆପେ ଏମାନଙ୍କ ମଧ୍ୟରେ ଉପସ୍ଥିତ ହେଲେ, ଏବଂ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପ୍ରତି ଶାନ୍ତି ବର୍ତ୍ତୁ।” 37ମାତ୍ର ସେମାନେ ଆତଙ୍କିତ ଓ ଭୀତ ହୋଇ ଗୋଟିଏ ଭୂତ ଦେଖୁଅଛନ୍ତି ବୋଲି ମନେ କଲେ। 38ସେଥିରେ ସେ ସେମାନଙ୍କୁ କହିଲେ, “କାହିଁକି ଉଦ୍ବିଗ୍ନ ହେଉଅଛ, ପୁଣି, ତୁମ୍ଭମାନଙ୍କ ମନରେ କାହିଁକି ତର୍କବିତର୍କ ଉଠୁଅଛି? 39ଏ ଯେ ସ୍ୱୟଂ ମୁଁ, ମୋହର ହାତ ଓ ପାଦ ଦେଖ, ମୋତେ ସ୍ପର୍ଶ କରି ଦେଖ, କାରଣ ମୋହର ଯେପରି ମାଂସ ଓ ଅସ୍ଥି ଥିବାର ତୁମ୍ଭେମାନେ ଦେଖୁଅଛ, ଭୂତର ସେପରି ନାହିଁ।” 40[ଆଉ ସେ ଏହା କହି ସେମାନଙ୍କୁ ଆପଣା ହାତ ଓ ପାଦ ଦେଖାଇଲେ।] 41ତେବେ ମଧ୍ୟ ସେମାନେ ଆନନ୍ଦ ହେତୁ ଅବିଶ୍ୱାସ କରି ଚମତ୍କୃତ ହେବାରୁ ସେ ସେମାନଙ୍କୁ ପଚାରିଲେ, “ଏଠାରେ ତୁମ୍ଭମାନଙ୍କ ପାଖରେ କଅଣ ଖାଦ୍ୟ ଅଛି?” 42ସେଥିରେ ସେମାନେ ତାହାଙ୍କୁ ଖଣ୍ଡେ ଭଜା ମାଛ ଦେଲେ। 43ଆଉ, ସେ ତାହା ଘେନି ସେମାନଙ୍କ ସାକ୍ଷାତରେ ଭୋଜନ କଲେ। 44ପୁଣି, ସେ ସେମାନଙ୍କୁ କହିଲେ, “ମୋଶାଙ୍କ ବ୍ୟବସ୍ଥାରେ ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତା ଧର୍ମଶାସ୍ତ୍ରରେ ମୋʼ ବିଷୟରେ ଯାହା ଯାହା ଲେଖାଅଛି, ସେହିସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି।” 45ସେତେବେଳେ ସେମାନେ ଯେପରି ଧର୍ମଶାସ୍ତ୍ର ବୁଝି ପାରନ୍ତି, ସେଥିପାଇଁ ସେ ସେମାନଙ୍କର ମନ ଉନ୍ମୁକ୍ତ କଲେ; 46ଆଉ ସେମାନଙ୍କୁ କହିଲେ, “ଏହି ପ୍ରକାରେ ଲେଖାଅଛି, ଖ୍ରୀଷ୍ଟ ଦୁଃଖଭୋଗ କରିବେ ଓ ତୃତୀୟ ଦିନରେ ମୃତମାନଙ୍କ ମଧ୍ୟରୁ ପୁନର୍ବାର ଜୀବିତ ହେବେ, 47ପୁଣି, ଯିରୂଶାଲମ ସହରରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ। 48ତୁମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ ଅଟ 49ଆଉ ଦେଖ, ମୋହର ପିତା ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ମୁଁ ତୁମ୍ଭମାନଙ୍କ ନିକଟକୁ ପଠାଉଅଛି, କିନ୍ତୁ ଊର୍ଦ୍ଧ୍ୱରୁ ଶକ୍ତି ପ୍ରାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହି ନଗରରେ ରହିଥାଅ।” 50ତତ୍ପରେ ସେ ସେମାନଙ୍କୁ ବେଥନୀୟାକୁ ଯିବା ବାଟ ପର୍ଯ୍ୟନ୍ତ ଘେନିଗଲେ ଓ ଆପଣା ହାତ ତୋଳି ସେମାନଙ୍କୁ ଆଶୀର୍ବାଦ କଲେ। 51ପୁଣି, ସେମାନଙ୍କୁ ଆଶୀର୍ବାଦ କରୁ କରୁ ସେ ସେମାନଙ୍କଠାରୁ ଅଲଗା ହୋଇ ସ୍ୱର୍ଗକୁ ନୀତ ହେଲେ। 52ଆଉ ସେମାନେ ତାହାଙ୍କୁ ପ୍ରଣାମ କରି ମହାନନ୍ଦରେ ଯିରୂଶାଲମ ସହରକୁ ବାହୁଡ଼ିଗଲେ, 53ପୁଣି, ସର୍ବଦା ମନ୍ଦିରରେ ରହି ଈଶ୍ବରଙ୍କ ସ୍ତବ କରିବାକୁ ଲାଗିଲେ।
ପତ୍ର
6ଆଉ, ଆମ୍ଭମାନଙ୍କୁ ପ୍ରଦତ୍ତ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ବିଭିନ୍ନ ଦାନ ପାଇଅଛୁ; ଏଣୁ ସେହି ଦାନ ଯଦି ଭାବବାଣୀ ହୁଏ, ଆସ, ଆମ୍ଭେମାନେ ବିଶ୍ୱାସର ପରିମାଣ ଅନୁସାରେ ଭାବବାଣୀ କହୁ; 7କିମ୍ବା ତାହା ଯଦି ସେବକ କର୍ମ ହୁଏ, ତାହାହେଲେ ଆସ, ଆମ୍ଭମାନଙ୍କ ସେବକ କର୍ମରେ ନିବିଷ୍ଟ ରହୁ; 8ଅବା ଯେ ଶିକ୍ଷା ଦିଏ, ସେ ଶିକ୍ଷାଦାନରେ, ବା ଯେ ଉପଦେଶ ଦିଏ, ସେ ଉପଦେଶ ଦାନରେ ନିବିଷ୍ଟ ରହୁ; ଯେ ଦାନ କରେ, ସେ ଉଦାର ଭାବରେ ଦାନ କରୁ; ଯେ ତତ୍ତ୍ୱାବଧାନ କରେ, ସେ ଯତ୍ନ ସହକାରେ ତତ୍ତ୍ୱାବଧାନ କରୁ; ଯେ ଦୟା କରେ, ସେ ହୃଷ୍ଟଚିତ୍ତରେ ତାହା କରୁ। 9ପ୍ରେମ ନିଷ୍କପଟ ହେଉ। ଯାହା ମନ୍ଦ, ତାହା ଘୃଣା କର; ଯାହା ଉତ୍ତମ, ସେଥିରେ ଆସକ୍ତ ହୁଅ; 10ଭ୍ରାତୃପ୍ରେମରେ ପରସ୍ପର ପ୍ରତି ପ୍ରେମଶୀଳ ହୁଅ; ସମାଦରରେ ପରସ୍ପରକୁ ଶ୍ରେଷ୍ଠ ଜ୍ଞାନ କର; 11ଉଦ୍ଯୋଗରେ ଶିଥିଳ ହୁଅ ନାହିଁ; ଆତ୍ମାରେ ଉତ୍ତପ୍ତ ହୁଅ; ପ୍ରଭୁଙ୍କ ସେବା କର; 12ଭରସାରେ ଆନନ୍ଦ କର; କ୍ଳେଶରେ ସହିଷ୍ଣୁ ହୁଅ, ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ; 13ସାଧୁମାନଙ୍କ ଅଭାବ ମୋଚନ କର; ଆତିଥ୍ୟ ସତ୍କାରରେ ପ୍ରସ୍ତୁତ ହୁଅ। 14ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଆଶୀର୍ବାଦ କର, ଅଭିଶାପ ଦିଅ ନାହିଁ।
ପତ୍ର (ପିତୃଗଣଙ୍କ ପାଇଁ)
7ଯେଉଁମାନେ ତୁମ୍ଭମାନଙ୍କୁ ଈଶ୍ବରଙ୍କ ବାକ୍ୟ କହିଥିଲେ, ତୁମ୍ଭମାନଙ୍କ ଏପରି ନେତାମାନଙ୍କୁ ସ୍ମରଣ କର; ସେମାନଙ୍କ ଜୀବନଯାତ୍ରାର ଶେଷ ଗତି ପ୍ରତି ଦୃଷ୍ଟି ରଖି ସେମାନଙ୍କ ବିଶ୍ୱାସର ଅନୁକାରୀ ହୁଅ। 8ଯୀଶୁ ଖ୍ରୀଷ୍ଟ କାଲି, ଆଜି ଓ ଅନନ୍ତକାଳ ସମାନ ଅଟନ୍ତି। 9ବିବିଧ ଓ ବିପରୀତ ପ୍ରକାର ଶିକ୍ଷାରେ ବିଚଳିତ ନ ହୁଅ, କାରଣ ଖାଦ୍ୟପଦାର୍ଥ ଦ୍ୱାରା ନୁହେଁ, ମାତ୍ର ଅନୁଗ୍ରହ ଦ୍ୱାରା ହୃଦୟ ସ୍ଥିରୀକୃତ ହେବା ଭଲ; ଯେଉଁମାନେ ଖାଦ୍ୟଦ୍ରବ୍ୟ ପ୍ରଥା ପାଳନ କରନ୍ତି, ସେମାନଙ୍କର କିଛି ଲାଭ ହେବ ନାହିଁ। 10ଯେଉଁ ବେଦିର ସାମଗ୍ରୀ ତମ୍ବୁର ଉପାସକମାନଙ୍କର ଭୋଜନ କରିବା ନିମନ୍ତେ ଅଧିକାର ନାହିଁ, ଆମ୍ଭମାନଙ୍କର ଏପରି ଏକ ବେଦି ଅଛି। 11କାରଣ ଯେଉଁ ସବୁ ପଶୁର ରକ୍ତ ପାପାର୍ଥକ ବଳି ସ୍ୱରୂପେ ମହାଯାଜକଙ୍କ ଦ୍ୱାରା ମହାପବିତ୍ର ସ୍ଥାନକୁ ଅଣାଯାଏ, ସେହିସବୁ ପଶୁର ଶରୀର ଛାଉଣୀର ବାହାରେ ଦଗ୍ଧ ହୁଏ। 12ଏଥିସକାଶେ ଯୀଶୁ ମଧ୍ୟ ଆପଣା ରକ୍ତ ଦ୍ୱାରା ଯେପରି ଲୋକଙ୍କୁ ପବିତ୍ର କରନ୍ତି, ଏଥିପାଇଁ ନଗର ଦ୍ୱାରର ବାହାରେ ମୃତ୍ୟୁଭୋଗ କଲେ। 13ଅତଏବ, ଆସ, ଆମ୍ଭେମାନେ ତାହାଙ୍କ ପରି ନିନ୍ଦା ସହ୍ୟ କରି ଛାଉଣୀର ବାହାରେ ତାହାଙ୍କ ନିକଟକୁ ଯାଉ। 14କାରଣ ଏଠାରେ ଆମ୍ଭମାନଙ୍କର ଚିରସ୍ଥାୟୀ ନଗର ନାହିଁ, କିନ୍ତୁ ଆମ୍ଭେମାନେ ଭବିଷ୍ୟତରେ ଚିରସ୍ଥାୟୀ ନଗରର ଅନ୍ୱେଷଣ କରୁଅଛୁ। 15ଏଣୁ ଆସ, ତାହାଙ୍କ ଦ୍ୱାରା ଆମ୍ଭେମାନେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ପ୍ରଶଂସାରୂପ ବଳି, ଅର୍ଥାତ୍ ତାହାଙ୍କ ନାମ ସ୍ୱୀକାରକାରୀ ଓଷ୍ଠାଧରର ଫଳ ନିତ୍ୟ ଉତ୍ସର୍ଗ କରୁ। 16ପରୋପକାର ଓ ଦାନ କରିବାକୁ ପାସୋର ନାହିଁ, କାରଣ ଏହିପରି ବଳିରେ ଈଶ୍ବରଙ୍କର ପରମ ସନ୍ତୋଷ।
ପତ୍ର (ସନ୍ଥ ସେରାଫିମ୍ଙ୍କ ପାଇଁ)
22କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା, 23ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ। 24ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି। 25ଯଦି ଆମ୍ଭେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରାପ୍ତ କରିଅଛୁ, ତେବେ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ଆଚରଣ କରୁ। 26ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ। 6:1ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ିପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ। 2ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବ୍ୟବସ୍ଥା ସଫଳ କରିବ।
ସୁସମାଚାର
1ସେଥିରେ ଯୀଶୁ ନୌକାରେ ଚଢ଼ି ପାରି ହେଲେ ଓ ନିଜ ନଗରକୁ ଆସିଲେ। 2ଆଉ ଦେଖ, ଲୋକେ ଶଯ୍ୟାଗତ ଜଣେ ପକ୍ଷାଘାତ ରୋଗୀକୁ ବହି ତାହାଙ୍କ ପାଖକୁ ଆଣିଲେ, ପୁଣି, ଯୀଶୁ ସେମାନଙ୍କ ବିଶ୍ୱାସ ଦେଖି ସେହି ପକ୍ଷାଘାତ ରୋଗୀକୁ କହିଲେ, “ବତ୍ସ, ସାହସ ଧର, ତୁମ୍ଭର ପାପସବୁ କ୍ଷମା କରାଗଲା।” 3ଆଉ ଦେଖ, ଶାସ୍ତ୍ରୀମାନଙ୍କ ମଧ୍ୟରୁ କେହି କେହି ମନେ ମନେ କହିଲେ, ଏହି ଲୋକ ଈଶ୍ବର ନିନ୍ଦା କରୁଅଛି। 4ଯୀଶୁ ସେମାନଙ୍କ ମନର ଚିନ୍ତା ଜାଣି କହିଲେ, “ତୁମ୍ଭେମାନେ ଆପଣା ଆପଣା ମନରେ କାହିଁକି କୁଚିନ୍ତା କରୁଅଛ? 5କାରଣ କଅଣ ସହଜ? ‘ତୁମ୍ଭର ପାପସବୁ କ୍ଷମା କରାଗଲା’ ବୋଲି କହିବା, ବା, ‘ଉଠ, ଚାଲ’ ବୋଲି କହିବା? 6କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର,” ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, “ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଚାଲିଯାଅ।” 7ସେଥିରେ ସେ ଉଠି ଆପଣା ଘରକୁ ଚାଲିଗଲା। 8ତାହା ଦେଖି ଲୋକସମୂହ ଭୟ କଲେ, ପୁଣି, ଯେଉଁ ଈଶ୍ବର ମନୁଷ୍ୟମାନଙ୍କୁ ଏପରି ଅଧିକାର ଦେଇଅଛନ୍ତି, ତାହାଙ୍କର ମହିମା କୀର୍ତ୍ତନ କଲେ।
ସୁସମାଚାର (ପିତୃଗଣଙ୍କ ପାଇଁ)
1ଯୀଶୁ ଏହି ସମସ୍ତ କଥା କହି ସ୍ୱର୍ଗ ଆଡ଼େ ଊର୍ଦ୍ଧ୍ୱଦୃଷ୍ଟି କରି କହିଲେ, “ପିତଃ, ସମୟ ଉପସ୍ଥିତ ହେଲାଣି; ତୁମ୍ଭର ପୁତ୍ରଙ୍କୁ ମହିମାନ୍ୱିତ କର, ଯେପରି ପୁତ୍ର ତୁମ୍ଭକୁ ମହିମାନ୍ୱିତ କରନ୍ତି, 2ଯେପ୍ରକାର ତୁମ୍ଭେ ତାହାଙ୍କୁ ଯେଉଁ ଯେଉଁ ଲୋକମାନଙ୍କୁ ଦେଇଅଛ, ସେମାନଙ୍କୁ ଅନନ୍ତ ଜୀବନ ଦେବା ନିମନ୍ତେ ତାହାଙ୍କୁ ସମସ୍ତ ମନୁଷ୍ୟ ଉପରେ ଅଧିକାର ଦେଲ। 3ଆଉ, ଏକମାତ୍ର ସତ୍ୟ ଈଶ୍ବର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନନ୍ତ ଜୀବନ ଅଟେ। 4ତୁମ୍ଭେ ମୋତେ ଯେଉଁ କର୍ମ କରିବାକୁ ଦେଇଅଛ, ତାହା ମୁଁ ସମାପ୍ତ କରି ପୃଥିବୀରେ ତୁମ୍ଭକୁ ମହିମାନ୍ୱିତ କରିଅଛି। 5ଆଉ ଏବେ, ହେ ପିତା, ଜଗତର ସୃଷ୍ଟି ପୂର୍ବେ ତୁମ୍ଭ ସହିତ ମୋହର ଯେଉଁ ମହିମା ଥିଲା, ତଦ୍ୱାରା ତୁମ୍ଭେ ମୋତେ ତୁମ୍ଭ ସହିତ ମହିମାନ୍ୱିତ କର।” 6“ତୁମ୍ଭେ ମୋତେ ଜଗତ ମଧ୍ୟରୁ ଯେଉଁ ଲୋକମାନଙ୍କୁ ଦାନ କଲ, ମୁଁ ସେମାନଙ୍କ ନିକଟରେ ତୁମ୍ଭର ନାମ ପ୍ରକାଶ କରିଅଛି; ସେମାନେ ତୁମ୍ଭର ଥିଲେ ଓ ତୁମ୍ଭେ ସେମାନଙ୍କୁ ମୋତେ ଦାନ କଲ, ଆଉ ସେମାନେ ତୁମ୍ଭର ବାକ୍ୟ ପାଳନ କରିଅଛନ୍ତି। 7ତୁମ୍ଭେ ମୋତେ ଯାହା ଯାହା ଦାନ କରିଅଛ, ସେହିସବୁ ଯେ ତୁମ୍ଭଠାରୁ ଉତ୍ପନ୍ନ, ଏହା ସେମାନେ ଏବେ ବୁଝିଅଛନ୍ତି; 8କାରଣ ତୁମ୍ଭେ ମୋତେ ଯେ ସମସ୍ତ ବାକ୍ୟ ଦାନ କଲ, ମୁଁ ସେମାନଙ୍କୁ ସେହିସବୁ ଦାନ କରିଅଛି, ଆଉ ସେମାନେ ଗ୍ରହଣ କରିଅଛନ୍ତି, ପୁଣି, ମୁଁ ଯେ ତୁମ୍ଭ ନିକଟରୁ ଆସିଅଛି, ତାହା ସତ୍ୟ ରୂପେ ଜାଣିଅଛନ୍ତି ଓ ତୁମ୍ଭେ ମୋତେ ପ୍ରେରଣ କରିଅଛ ବୋଲି ବିଶ୍ୱାସ କରିଅଛନ୍ତି। 9ମୁଁ ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି; ଜଗତ ନିମନ୍ତେ ପ୍ରାର୍ଥନା କରୁ ନାହିଁ, କିନ୍ତୁ ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ସେମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛି, କାରଣ ସେମାନେ ତୁମ୍ଭର; 10ଯାହା ଯାହା ମୋହର, ସେହିସବୁ ତୁମ୍ଭର, ପୁଣି, ଯାହା ଯାହା ତୁମ୍ଭର, ସେହିସବୁ ମୋହର; ଆଉ, ମୁଁ ସେମାନଙ୍କଠାରେ ମହିମାନ୍ୱିତ ହୋଇଅଛି। 11ମୁଁ ଆଉ ଏ ଜଗତରେ ରହୁ ନାହିଁ, କିନ୍ତୁ ଏମାନେ ଜଗତରେ ରହୁଅଛନ୍ତି; ପୁଣି, ମୁଁ ତୁମ୍ଭ ନିକଟକୁ ଯାଉଅଛି। ପବିତ୍ର ପିତଃ, ତୁମ୍ଭ ସେହି ନାମରେ ସେମାନଙ୍କୁ ରକ୍ଷା କର ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ, ଯେପରି ଆମ୍ଭେମାନେ ଯେପ୍ରକାର ଏକ, ସେମାନେ ସେପ୍ରକାର ଏକ ହୁଅନ୍ତି। 12ସେମାନଙ୍କ ସହିତ ରହୁଥିବା ସମୟରେ ମୁଁ ସେମାନଙ୍କୁ ତୁମ୍ଭ ସେହି ନାମରେ ରକ୍ଷା କରି ଅାସିଅଛି ଯେଉଁ ନାମ ତୁମ୍ଭେ ମୋତେ ଦେଇଅଛ, ଆଉ ମୁଁ ସେମାନଙ୍କୁ ସାବଧାନରେ ରକ୍ଷା କରିଅଛି ଓ ଧର୍ମଶାସ୍ତ୍ର ଯେପରି ସଫଳ ହୁଏ, ଏଥିନିମନ୍ତେ ବିନାଶର ସନ୍ତାନ ବିନା ସେମାନଙ୍କ ମଧ୍ୟରୁ ଜଣେ କେହି ବିନଷ୍ଟ ହୋଇ ନାହିଁ।” 13“କିନ୍ତୁ ଏବେ ମୁଁ ତୁମ୍ଭ ନିକଟକୁ ଯାଉଅଛି, ଆଉ ସେମାନଙ୍କ ଅନ୍ତରେ ମୋହର ଆନନ୍ଦ ଯେପରି ସମ୍ପୂର୍ଣ୍ଣ ହୁଏ, ସେଥିନିମନ୍ତେ ଜଗତରେ ଥାଉ ଥାଉ ମୁଁ ଏହାସବୁ କହୁଅଛି।
ସୁସମାଚାର (ସନ୍ଥ ସେରାଫିମ୍ଙ୍କ ପାଇଁ)
17ଆଉ ସେ ସେମାନଙ୍କ ସହିତ ଓହ୍ଲାଇ ଗୋଟିଏ ସମତଳ ଭୂମିରେ ଠିଆ ହେଲେ, ପୁଣି, ତାହାଙ୍କର ଅନେକ ଶିଷ୍ୟ ଏବଂ ସମସ୍ତ ଯିହୂଦିୟା ପ୍ରଦେଶ, ଯିରୂଶାଲମ ଆଉ ସୋର ଓ ସୀଦୋନର ଉପକୂଳରୁ ଅନେକେ ଉପସ୍ଥିତ ହେଲେ; 18ସେମାନେ ତାହାଙ୍କ ବାକ୍ୟ ଶୁଣିବାକୁ ଓ ଆପଣା ଆପଣା ରୋଗରୁ ସୁସ୍ଥ ହେବାକୁ ଆସିଥିଲେ, ଆଉ ଯେଉଁମାନେ ଅଶୁଚି ଆତ୍ମାଗୁଡ଼ାକ ଦ୍ୱାରା କଷ୍ଟ ପାଉଥିଲେ, ସେମାନେ ସୁସ୍ଥ କରାଗଲେ; 19ପୁଣି, ଲୋକସମୂହ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ, କାରଣ ତାହାଙ୍କଠାରୁ ଶକ୍ତି ବାହାରି ସମସ୍ତଙ୍କୁ ସୁସ୍ଥ କରୁଥିଲା। 20ସେ ସମୟରେ ସେ ଆପଣା ଶିଷ୍ୟମାନଙ୍କୁ ଦେଖି କହିଲେ, “ଦୀନହୀନ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କର। 21ବର୍ତ୍ତମାନ କ୍ଷୁଧିତ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ପରିତୃପ୍ତ ହେବ। ବର୍ତ୍ତମାନ ରୋଦନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ହାସ୍ୟ କରିବ। 22ଲୋକେ ଯେବେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ମନୁଷ୍ୟପୁତ୍ରଙ୍କ ହେତୁ ଅଲଗା କରନ୍ତି ପୁଣି, ନିନ୍ଦା କରନ୍ତି ଓ ତୁମ୍ଭମାନଙ୍କ ନାମକୁ ମନ୍ଦ ବୋଲି ଅଗ୍ରାହ୍ୟ କରନ୍ତି, ତେବେ ତୁମ୍ଭେମାନେ ଧନ୍ୟ। 23ସେହି ଦିନ ଆନନ୍ଦରେ ନୃତ୍ୟ କର, କାରଣ ଦେଖ, ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ଆଉ ସେହିପରି ତ ସେମାନଙ୍କ ପିତୃ-ପୁରୁଷମାନେ ଭାବବାଦୀମାନଙ୍କ ପ୍ରତି କରୁଥିଲେ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଜୁଲାଇ 19 ନାଗରିକ ପଞ୍ଜିକାର ଅଗଷ୍ଟ 1। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର