Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 9

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 9 ଅଗଷ୍ଟ 2027

ସୋମବାର · ସାଧାରଣ କାଳର 19ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 19ତମ ସପ୍ତାହର ସୋମବାର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ

କ୍ରୁଶର ସନ୍ଥ ଟେରେସା ବେନେଡିକ୍ଟା (ଏଡିଥ୍ ଷ୍ଟାଇନ୍), କୁମାରୀ ଓ ଶହୀଦ · ଇଚ୍ଛାଧୀନ ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ଦ୍ବି.ବି 10:12–22

12ଏବେ ହେ ଇସ୍ରାଏଲ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ଭୟ କରିବାର, ତାହାଙ୍କ ସକଳ ପଥରେ ଗମନ କରିବାର ଓ ତାହାଙ୍କୁ ପ୍ରେମ କରିବାର, ପୁଣି ଆପଣାର ସମସ୍ତ ଅନ୍ତଃକରଣ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସେବା କରିବାର, 13ଆଉ ଆଜି ମୁଁ ତୁମ୍ଭର ହିତ ନିମନ୍ତେ ସଦାପ୍ରଭୁଙ୍କ ଯେଉଁ ଯେଉଁ ଆଜ୍ଞା ଓ ବିଧି ତୁମ୍ଭମାନଙ୍କୁ ଦେଉଅଛି, ସେସମସ୍ତ ପାଳନ କରିବାର, ଏସବୁ ଛଡ଼ା ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭଠାରୁ ଆଉ କଅଣ ଚାହାନ୍ତି? 14ଦେଖ, ଆକାଶମଣ୍ଡଳ ଓ ତହିଁ ଉପରିସ୍ଥ ସ୍ୱର୍ଗ, ପୁଣି ପୃଥିବୀ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଅଟେ। 15କେବଳ ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ସ୍ନେହ କରିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆଜି ଦିନ ପରି ସେ ସର୍ବଗୋଷ୍ଠୀୟ ଲୋକମାନଙ୍କଠାରୁ ମନୋନୀତ କଲେ। 16ଏଥିପାଇଁ ତୁମ୍ଭେମାନେ ଆପଣା ଆପଣା ହୃଦୟର ଅଗ୍ରଚର୍ମ ସୁନ୍ନତ କର, ଆଉ ଶକ୍ତଗ୍ରୀବ ହୁଅ ନାହିଁ। 17କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ସେ ଦେବଗଣର ଦେବ, ପ୍ରଭୁମାନଙ୍କର ପ୍ରଭୁ, ମହାନ, ସର୍ବଶକ୍ତିମାନ ଓ ଭୟଙ୍କର ପରମେଶ୍ୱର ଅଟନ୍ତି, ସେ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, କିଅବା ଲାଞ୍ଚ ଗ୍ରହଣ କରନ୍ତି ନାହିଁ। 18ସେ ପିତୃହୀନ, ବିଧବାର ବିଚାର ନିଷ୍ପତ୍ତି କରନ୍ତି ଓ ବିଦେଶୀକୁ ଅନ୍ନ ଓ ବସ୍ତ୍ର ଦେଇ ପ୍ରେମ କରନ୍ତି। 19ଏଥିପାଇଁ ତୁମ୍ଭେମାନେ ବିଦେଶୀକୁ ପ୍ରେମ କର, କାରଣ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ। 20ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ଭୟ କରିବ; ତାହାଙ୍କର ତୁମ୍ଭେ ସେବା କରିବ ଓ ତାହାଙ୍କଠାରେ ତୁମ୍ଭେ ଆସକ୍ତ ହେବ, ପୁଣି ତାହାଙ୍କ ନାମରେ ତୁମ୍ଭେ ଶପଥ କରିବ। 21ସେ ତୁମ୍ଭର ପ୍ରଶଂସାର ଯୋଗ୍ୟ, ପୁଣି ସେ ତୁମ୍ଭର ପରମେଶ୍ୱର ଅଟନ୍ତି, ତୁମ୍ଭର ଚକ୍ଷୁ ଯାହା ଯାହା ଦେଖିଅଛି, ସେହି ସବୁ ମହତ୍ ଓ ଭୟଙ୍କର କର୍ମ ସେ ତୁମ୍ଭ ନିମନ୍ତେ କରିଅଛନ୍ତି। 22ତୁମ୍ଭ ପୂର୍ବପୁରୁଷମାନେ ସତୁରି ପ୍ରାଣୀ ସହିତ ମିସରକୁ ଯାଇଥିଲେ; ମାତ୍ର ଏବେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆକାଶମଣ୍ଡଳର ତାରାଗଣ ପରି ତୁମ୍ଭକୁ ବହୁସଂଖ୍ୟକ କରିଅଛନ୍ତି।

ପ୍ରତିଉତ୍ତର ଗୀତ

ଗୀତ 147:12–15, 19–20

12ହେ ଯିରୂଶାଲମ, ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସିୟୋନ, ତୁମ୍ଭ ପରମେଶ୍ୱରଙ୍କର ପ୍ରଶଂସା କର; 13କାରଣ ସେ ତୁମ୍ଭ ଦ୍ୱାରର ଅର୍ଗଳସବୁ ଦୃଢ଼ କରିଅଛନ୍ତି; ସେ ତୁମ୍ଭ ମଧ୍ୟବର୍ତ୍ତୀ ତୁମ୍ଭ ସନ୍ତାନଗଣକୁ ଆଶୀର୍ବାଦ କରିଅଛନ୍ତି। 14ସେ ତୁମ୍ଭ ସୀମା ମଧ୍ୟରେ ଶାନ୍ତି ସ୍ଥାପନ କରନ୍ତି; ସେ ସର୍ବୋତ୍ତମ ଗହମରେ ତୁମ୍ଭକୁ ତୃପ୍ତ କରନ୍ତି। 15ସେ ପୃଥିବୀରେ ଆପଣା ଆଜ୍ଞା ପ୍ରେରଣ କରନ୍ତି; ତାହାଙ୍କ ବାକ୍ୟ ଅତି ଶୀଘ୍ର ଦୌଡ଼ଇ। 19ସେ ଯାକୁବ ପ୍ରତି ଆପଣା ବାକ୍ୟ, ଇସ୍ରାଏଲ ପ୍ରତି ଆପଣା ବିଧି ଓ ଶାସନ ପ୍ରକାଶ କରନ୍ତି। 20ସେ କୌଣସି ଗୋଷ୍ଠୀ ପ୍ରତି ଏପରି ବ୍ୟବହାର କରି ନାହାନ୍ତି; ତାହାଙ୍କ ଶାସନ ବିଷୟ କହିବାକୁ ଗଲେ, ସେମାନେ ତାହା ଜାଣି ନାହାନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ସୁସମାଚାର

ମାଥି 17:22–27

22ଆଉ ସେମାନେ ଗାଲିଲୀରେ ଏକତ୍ର ହେବା ସମୟରେ ଯୀଶୁ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଅଛନ୍ତି, 23ପୁଣି, ସେମାନେ ତାହାଙ୍କୁ ବଧ କରିବେ, ଆଉ ତୃତୀୟ ଦିବସରେ ସେ ଉଠିବେ। ଏଥିରେ ସେମାନେ ଅତ୍ୟନ୍ତ ଦୁଃଖିତ ହେଲେ।” 24ଏଥିମଧ୍ୟରେ ସେମାନେ କଫର୍ନାହୂମ ନଗରକୁ ଆସନ୍ତେ ମନ୍ଦିରର କର ଆଦାୟକାରୀ ଲୋକେ ପିତରଙ୍କ ନିକଟକୁ ଆସି ପଚାରିଲେ, ତୁମ୍ଭମାନଙ୍କର ଗୁରୁ କଅଣ ମନ୍ଦିରର କର ଦିଅନ୍ତି ନାହିଁ? 25ସେ କହିଲେ, ହଁ, ଦିଅନ୍ତି। ଆଉ ସେ ଘରକୁ ଆସିଲା ପରେ ଯୀଶୁ ଆଗେ ତାହାକୁ କହିଲେ, “ଶିମୋନ, ତୁମ୍ଭର ମତ କଅଣ? ପୃଥିବୀର ରାଜାମାନେ କାହା ପାଖରୁ କର ବା ରାଜସ୍ୱ ନିଅନ୍ତି? ସେମାନଙ୍କ ସନ୍ତାନଗଣଙ୍କଠାରୁ କିମ୍ବା ବିଦେଶୀମାନଙ୍କଠାରୁ?” 26ସେ ବିଦେଶୀମାନଙ୍କଠାରୁ ବୋଲି କହନ୍ତେ ଯୀଶୁ ତାହାଙ୍କୁ କହିଲେ, “ତେବେ ତ ପୁତ୍ରମାନେ ମୁକ୍ତ। 27କିନ୍ତୁ ଆମ୍ଭେମାନେ ଯେପରି ସେମାନଙ୍କ ବିଘ୍ନର କାରଣ ନ ହେଉ, ଏଥିପାଇଁ ସମୁଦ୍ରକୁ ଯାଇ ବନଶି ପକାଅ, ଆଉ ପ୍ରଥମେ ଯେଉଁ ମାଛ ପଡ଼ିବ, ତାହାକୁ ଧରି ତାହାର ମୁଖ ଫିଟାଇଲେ ଗୋଟିଏ ରୌପ୍ୟ-ମୁଦ୍ରା ପାଇବ; ତାହା ନେଇ ମୋ ପାଇଁ ଓ ତୁମ୍ଭ ପାଇଁ ସେମାନଙ୍କୁ ଦିଅ।”

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର