ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 15
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 15 ଅଗଷ୍ଟ 2027
ରବିବାର · ସାଧାରଣ କାଳର 20ତମ ସପ୍ତାହ
ପର୍ବ ଓ ସନ୍ଥ
ଧନ୍ୟା କୁମାରୀ ମରୀୟମଙ୍କ ସ୍ୱର୍ଗାରୋପଣ
ମହାପର୍ବ · ଉପାସନାର ରଙ୍ଗ: ଧଳା
ଦିନର ପାଠ
ପ୍ରଥମ ପାଠ
19ସେତେବେଳେ ସ୍ୱର୍ଗରେ ଥିବା ଈଶ୍ବରଙ୍କ ମନ୍ଦିର ଉନ୍ମୁକ୍ତ ହେଲା ଓ ତାହାଙ୍କ ମନ୍ଦିର ମଧ୍ୟରେ ତାହାଙ୍କ ନିୟମ-ସିନ୍ଦୁକ ଦେଖାଗଲା, ପୁଣି, ବିଦ୍ୟୁତ୍, ବିଭିନ୍ନ ସ୍ୱର, ମେଘଗର୍ଜ୍ଜନ, ଭୂମିକମ୍ପ ଓ ମହା ଶିଳାବୃଷ୍ଟି ହେଲା। 12:1ପରେ ଆକାଶରେ ଗୋଟିଏ ମହାଲକ୍ଷଣ ଦେଖାଗଲା; ସୂର୍ଯ୍ୟ ପରିଧାନ କରିଥିବା ଜଣେ ସ୍ତ୍ରୀଲୋକ, ଏବଂ ତାହାଙ୍କ ପାଦ ତଳେ ଚନ୍ଦ୍ର ଓ ମସ୍ତକରେ ଦ୍ୱାଦଶ ନକ୍ଷତ୍ର ଖଚିତ ଗୋଟିଏ ମୁକୁଟ। 2ସେ ଗର୍ଭବତୀ ହୋଇ ପ୍ରସବ ବେଦନାରେ ଆର୍ତ୍ତସ୍ୱର କରି ପ୍ରସବ କରିବା ନିମନ୍ତେ କଷ୍ଟ ପାଉଥିଲେ। 3ଆକାଶରେ ଆଉ ଗୋଟିଏ ଲକ୍ଷଣ ଦେଖାଗଲା; ଦେଖ, ଗୋଟିଏ ଲାଲ୍ ରଙ୍ଗର ପ୍ରକାଣ୍ଡ ସର୍ପ, ତାହାର ସପ୍ତ ମସ୍ତକ ଓ ଦଶ ଶୃଙ୍ଗ, ପୁଣି, ମସ୍ତକ ଗୁଡ଼ିକ ଉପରେ ସପ୍ତ ମୁକୁଟ। 4ତାହାର ଲାଙ୍ଗୁଳ ଆକାଶର ତୃତୀୟାଂଶ ନକ୍ଷତ୍ରକୁ ଟାଣିଆଣି ପୃଥିବୀରେ ନିକ୍ଷେପ କଲା। ଆଉ ସେହି ସର୍ପ ପ୍ରସବ କରିବା ମାତ୍ର ତାହାଙ୍କ ସନ୍ତାନକୁ ଗ୍ରାସ କରିବା ନିମନ୍ତେ ତାହାଙ୍କ ସମ୍ମୁଖରେ ଠିଆ ହେଲା। 5ଯେ ସମସ୍ତ ଜାତିଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଏପରି ପୁତ୍ରସନ୍ତାନଙ୍କୁ ସେହି ସ୍ତ୍ରୀଲୋକ ପ୍ରସବ କଲେ, ଆଉ ତାହାଙ୍କ ସନ୍ତାନ ଈଶ୍ବର ଓ ତାହାଙ୍କ ସିଂହାସନ ନିକଟକୁ ଉଠାଇ ନିଆଗଲେ। 6ପୁଣି, ସେହି ସ୍ତ୍ରୀଲୋକ ପ୍ରାନ୍ତରକୁ ଦୌଡ଼ି ପଳାଇଗଲେ, ସେଠାରେ ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ପ୍ରତିପାଳିତ ହେବା ପାଇଁ ତାହାଙ୍କ ନିମନ୍ତେ ଈଶ୍ବରଙ୍କ ନିୟନ୍ତ୍ରଣରେ ପ୍ରସ୍ତୁତ ଗୋଟିଏ ସ୍ଥାନ ଥିଲା। 10ସେତେବେଳେ ମୁଁ ସ୍ୱର୍ଗରେ ଏହି ଉଚ୍ଚସ୍ୱର ଶୁଣିଲି, “ବର୍ତ୍ତମାନ ଆମ୍ଭମାନଙ୍କ ଈଶ୍ବରଙ୍କ ପରିତ୍ରାଣ, ପରାକ୍ରମ ଓ ରାଜ୍ୟ ପୁଣି, ତାହାଙ୍କ ଖ୍ରୀଷ୍ଟଙ୍କର କର୍ତ୍ତାପଣ ଉପସ୍ଥିତ ହୋଇଅଛି, କାରଣ ଆମ୍ଭମାନଙ୍କ ଭାଇମାନଙ୍କ ଅପବାଦକ, ଯେ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ଆମ୍ଭମାନଙ୍କ ଈଶ୍ବରଙ୍କ ଛାମୁରେ ଅଭିଯୋଗ କରୁଥିଲା, ସେ ତଳେ ନିକ୍ଷିପ୍ତ ହୋଇଅଛି।
ପ୍ରତିଉତ୍ତର ଗୀତ
9ତୁମ୍ଭର ସମ୍ଭ୍ରାନ୍ତା ସ୍ତ୍ରୀଗଣ ମଧ୍ୟରେ ରାଜକୁମାରୀମାନେ ଅଛନ୍ତି; ଓଫରୀୟ ସୁବର୍ଣ୍ଣରେ ଭୂଷିତା ରାଣୀ ତୁମ୍ଭ ଦକ୍ଷିଣ ପାଖରେ ଉଭା ହୁଅନ୍ତି। 10ଆଗୋ କନ୍ୟେ, ଶୁଣ, ବିବେଚନା କର ଓ ଆପଣା କର୍ଣ୍ଣ ଡେର; ତୁମ୍ଭ ନିଜ ଲୋକଙ୍କୁ ଓ ପିତୃଗୃହକୁ ପାସୋର; 11ତହିଁରେ ରାଜା ତୁମ୍ଭ ସୌନ୍ଦର୍ଯ୍ୟ ବାଞ୍ଛା କରିବେ। କାରଣ ସେ ତୁମ୍ଭର ପ୍ରଭୁ; ତୁମ୍ଭେ ତାହାଙ୍କୁ ପ୍ରଣାମ କର। 15ସେମାନେ ଆନନ୍ଦ ଓ ଉଲ୍ଲାସରେ ଅଣାଯିବେ; ସେମାନେ ରାଜାଙ୍କ ଅଟ୍ଟାଳିକାରେ ପ୍ରବେଶ କରିବେ;
ଦ୍ୱିତୀୟ ପାଠ
20କିନ୍ତୁ ପ୍ରକୃତରେ ଖ୍ରୀଷ୍ଟ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କର ପ୍ରଥମ ଫଳ ସ୍ୱରୂପେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି। 21କାରଣ ମନୁଷ୍ୟ ଦ୍ୱାରା ମୃତ୍ୟୁ ଉପସ୍ଥିତ ହୋଇଥିବାରୁ ମନୁଷ୍ୟ ଦ୍ୱାରା ମଧ୍ୟ ମୃତମାନଙ୍କର ପୁନରୁତ୍ଥାନ ଉପସ୍ଥିତ ହୋଇଅଛି। 22ଯେଣୁ ଆଦମ ଦ୍ୱାରା ଯେପରି ସମସ୍ତେ ମୃତ୍ୟୁଭୋଗ କରନ୍ତି, ସେହିପରି ମଧ୍ୟ ଖ୍ରୀଷ୍ଟଙ୍କ ଦ୍ୱାରା ସମସ୍ତେ ସଜୀବ ହେବେ। 23କିନ୍ତୁ ପ୍ରତ୍ୟେକ ଜଣ ଆପଣା ଆପଣା କ୍ରମାନୁସାରେ ପ୍ରଥମ ଫଳ ସ୍ୱରୂପ ଖ୍ରୀଷ୍ଟ, ପରେ ଖ୍ରୀଷ୍ଟଙ୍କ ଆଗମନ ସମୟରେ ତାହାଙ୍କ ଆଶ୍ରିତମାନେ; 24ତତ୍ପରେ ଯୁଗାନ୍ତ ଉପସ୍ଥିତ ହେବ, ସେ ସମୟରେ ସେ ସମସ୍ତ କର୍ତ୍ତାପଣ, ସମସ୍ତ କ୍ଷମତା ଓ ଶକ୍ତି ଲୋପ କଲା ଉତ୍ତାରେ ଈଶ୍ବର ପିତାଙ୍କୁ ରାଜତ୍ୱ ସମର୍ପଣ କରିବେ। 25କାରଣ ସେ ସମସ୍ତ ଶତ୍ରୁଙ୍କୁ ନିଜର ପାଦ ତଳେ ନ ରଖିବା ପର୍ଯ୍ୟନ୍ତ ତାହାଙ୍କୁ ଅବଶ୍ୟ ରାଜତ୍ୱ କରିବାକୁ ହେବ। 26ଶେଷ ଶତ୍ରୁ ସ୍ୱରୂପେ ମୃତ୍ୟୁକୁ ଲୋପ କରାଯିବ;
ସୁସମାଚାର
39ଏହି ସମୟରେ ମରୀୟମ ଉଠି ପାର୍ବତୀୟ ଅଞ୍ଚଳର ଯିହୂଦା ପ୍ରଦେଶର ଗୋଟିଏ ନଗରକୁ ଶୀଘ୍ର ଗଲେ, 40ପୁଣି, ଜିଖରୀୟଙ୍କ ଗୃହରେ ପ୍ରବେଶ କରି ଏଲୀଶାବେଥଙ୍କୁ ନମସ୍କାର କଲେ। 41ଆଉ, ଏଲୀଶାବେଥ ମରୀୟମଙ୍କ ନମସ୍କାର ଶୁଣିବାମାତ୍ରେ ଶିଶୁଟି ତାହାଙ୍କ ଗର୍ଭରେ ନାଚି ଉଠିଲା, ପୁଣି, ଏଲୀଶାବେଥ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ 42ଅତି ଉଚ୍ଚସ୍ୱରରେ କହିଲେ, ନାରୀମାନଙ୍କ ମଧ୍ୟରେ ତୁମ୍ଭେ ଧନ୍ୟ, ପୁଣି, ଧନ୍ୟ ତୁମ୍ଭର ଗର୍ଭର ଫଳ। 43ଆଉ, ମୋ ପ୍ରଭୁଙ୍କ ମାତା ଯେ ମୋʼ ନିକଟକୁ ଆସିବେ, ମୋହର ଏହି ସୌଭାଗ୍ୟ କେଉଁଠାରୁ ହେଲା? 44କାରଣ ଦେଖ, ତୁମ୍ଭ ସମ୍ଭାଷଣର ସ୍ୱର ମୋʼ କାନରେ ପ୍ରବେଶ କରିବା ମାତ୍ରେ ଶିଶୁଟି ମୋʼ ଗର୍ଭରେ ଉଲ୍ଲାସରେ ନାଚି ଉଠିଲା। 45ଯେ ବିଶ୍ୱାସ କଲେ, ସେ ଧନ୍ୟ, କାରଣ ପ୍ରଭୁଙ୍କଠାରୁ ତାହାଙ୍କୁ ଯାହା ଯାହା କୁହାଯାଇଅଛି, ସେହିସବୁ ସଫଳ ହେବ। 46ଏଥିରେ ମରୀୟମ କହିଲେ, “ମୋହର ପ୍ରାଣ ପ୍ରଭୁଙ୍କର ପ୍ରଶଂସା କରୁଅଛି, 47ପୁଣି, ମୋହର ଆତ୍ମା ମୋʼ ତ୍ରାଣକର୍ତ୍ତା ଈଶ୍ବରଙ୍କଠାରେ ଆନନ୍ଦିତ ହୋଇଅଛି; 48କାରଣ ସେ ଆପଣା ଦାସୀର ଦୀନାବସ୍ଥା ପ୍ରତି ଦୃଷ୍ଟିପାତ କରିଅଛନ୍ତି। ଆଉ ଦେଖ, ବର୍ତ୍ତମାନଠାରୁ ସମସ୍ତ ପିଢ଼ି ମୋତେ ଧନ୍ୟ ବୋଲି କହିବେ, 49କାରଣ ଯେ ଶକ୍ତିମାନ, ସେ ମୋʼ ପ୍ରତି ମହତ କର୍ମ କରିଅଛନ୍ତି; ତାହାଙ୍କର ନାମ ପବିତ୍ର, 50ଆଉ ତାହାଙ୍କ ଭୟକାରୀମାନଙ୍କ ପ୍ରତି ତାହାଙ୍କ ଦୟା ପୁରୁଷାନୁକ୍ରମେ ଥାଏ। 51ସେ ଆପଣା ବାହୁରେ ପରାକ୍ରମ ପ୍ରକାଶ କରିଅଛନ୍ତି, ଅହଙ୍କାରୀମାନଙ୍କୁ ସେମାନଙ୍କ ହୃଦୟର କଳ୍ପନାରେ ଛିନ୍ନଭିନ୍ନ କରିଅଛନ୍ତି; 52ସେ ଶାସନକର୍ତ୍ତାମାନଙ୍କୁ ସିଂହାସନରୁ ବାହାର କରିଅଛନ୍ତି, ଦୀନହୀନମାନଙ୍କୁ ଉଠାଇଅଛନ୍ତି, 53ସେ କ୍ଷୁଧିତମାନଙ୍କୁ ଉତ୍ତମ ଉତ୍ତମ ଦ୍ରବ୍ୟରେ ତୃପ୍ତ କରିଅଛନ୍ତି, ଧନୀମାନଙ୍କୁ ଶୂନ୍ୟ ହସ୍ତରେ ବିଦାୟ କରିଅଛନ୍ତି। 54ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ପ୍ରତି ଉକ୍ତ ତାହାଙ୍କର ବାକ୍ୟାନୁସାରେ, ସେ ଅବ୍ରହାମ ଓ ତାହାଙ୍କ ସନ୍ତାନମାନଙ୍କ ପ୍ରତି, 55ଯୁଗେ ଯୁଗେ ଦୟା ସ୍ମରଣ କରିବା ନିମନ୍ତେ ଆପଣଙ୍କ ଦାସ ଇସ୍ରାଏଲର ଉପକାର କରିଅଛନ୍ତି।” 56ଆଉ ମରୀୟମ ପ୍ରାୟ ତିନି ମାସ ତାହାଙ୍କ ସହିତ ରହି ଆପଣା ଗୃହକୁ ଫେରିଗଲେ।
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର