ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 17
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 17 ଅଗଷ୍ଟ 2027
ମଙ୍ଗଳବାର · ସାଧାରଣ କାଳର 20ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 20ତମ ସପ୍ତାହର ମଙ୍ଗଳବାର
ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ
ଦିନର ପାଠ
ପ୍ରଥମ ପାଠ
11ଏଥିଉତ୍ତାରେ ସଦାପ୍ରଭୁଙ୍କର ଦୂତ ଆସି ଅବୀୟେଷ୍ରୀୟ ଯୋୟାଶ୍ର ଅଧିକାରସ୍ଥ ଅଫ୍ରାରେ ଅଲୋନ ବୃକ୍ଷ ମୂଳରେ ବସିଲେ; ସେହି ସମୟରେ ତାହାର ପୁତ୍ର ଗିଦିୟୋନ୍ ମିଦୀୟନୀୟମାନଙ୍କଠାରୁ ଗହମ ଲୁଚାଇବା ପାଇଁ ଦ୍ରାକ୍ଷାରସ-କୁଣ୍ଡ ଭିତରେ ତାହା ମଳୁଥିଲେ। 12ତହିଁରେ ସଦାପ୍ରଭୁଙ୍କ ଦୂତ ତାହାକୁ ଦର୍ଶନ ଦେଇ କହିଲେ, “ହେ ମହାବିକ୍ରମଶାଳୀ ଲୋକ, ସଦାପ୍ରଭୁ ତୁମ୍ଭ ସଙ୍ଗେ ଅଛନ୍ତି।” 13ଏଥିରେ ଗିଦିୟୋନ୍ ତାହାଙ୍କୁ କହିଲେ, ହେ ମୋହର ପ୍ରଭୋ, ଯେବେ ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗେ ଥାଆନ୍ତି, ତେବେ ଆମ୍ଭମାନଙ୍କ ପ୍ରତି ଏହିସବୁ ଘଟିଅଛି କାହିଁକି? ପୁଣି ସଦାପ୍ରଭୁ ଆମ୍ଭମାନଙ୍କୁ କି ମିସରରୁ ଆଣି ନାହାନ୍ତି, ଏହା କହି ଆମ୍ଭମାନଙ୍କ ପୂର୍ବପୁରୁଷମାନେ ଆମ୍ଭମାନଙ୍କ ଆଗରେ ତାହାଙ୍କର ଯେସବୁ ଆଶ୍ଚର୍ଯ୍ୟକ୍ରିୟାର କୀର୍ତ୍ତନ କରିଥିଲେ, ସେସବୁ କାହିଁ? ମାତ୍ର ଏବେ ସଦାପ୍ରଭୁ ଆମ୍ଭମାନଙ୍କୁ ତ୍ୟାଗ କରିଅଛନ୍ତି ଓ ଆମ୍ଭମାନଙ୍କୁ ମିଦୀୟନର ହସ୍ତରେ ସମର୍ପଣ କରିଅଛନ୍ତି। 14ସେତେବେଳେ ସଦାପ୍ରଭୁ ତାଙ୍କୁ ଅନାଇ କହିଲେ, “ତୁମ୍ଭେ ଆପଣା ଏହି ବଳରେ ଯାଇ ମିଦୀୟନ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କର; ଆମ୍ଭେ କି ତୁମ୍ଭକୁ ପଠାଇ ନାହୁଁ?” 15ତହୁଁ ସେ ତାହାଙ୍କୁ କହିଲେ, “ହେ ପ୍ରଭୋ, ମୁଁ କାହିଁରେ ଇସ୍ରାଏଲକୁ ଉଦ୍ଧାର କରିବି? ଦେଖ, ମନଃଶି (ବଂଶ) ମଧ୍ୟରେ ମୋହର ପରିବାର ସବୁଠାରୁ କ୍ଷୀଣ, ପୁଣି ମୋʼ ପିତୃଗୃହ ମଧ୍ୟରେ ମୁଁ ସବୁଠୁଁ କନିଷ୍ଠ।” 16ତେବେ ସଦାପ୍ରଭୁ ତାହାକୁ କହିଲେ, “ଆମ୍ଭେ ନିଶ୍ଚୟ ତୁମ୍ଭ ସଙ୍ଗେ ହେବା, ତହିଁରେ ତୁମ୍ଭେ ମିଦୀୟନୀୟମାନଙ୍କୁ ଏପରି ସଂହାର କରିବ ଯେପରି ଏକ ଜଣକୁ ସଂହାର କରୁଅଛ।” 17ତହୁଁ ସେ ତାହାଙ୍କୁ କହିଲେ, “ଯେବେ ମୁଁ ଆପଣଙ୍କ ଦୃଷ୍ଟିରେ ଏବେ ଅନୁଗ୍ରହ ପାଇଲି, ତେବେ ଆପଣ ଯେ ମୋହର ସଙ୍ଗରେ କଥା କହୁଅଛନ୍ତି, ତହିଁର ଏକ ଚିହ୍ନ ମୋତେ ଦେଖାଉନ୍ତୁ। 18ବିନୟ କରୁଅଛି, ମୁଁ ଆପଣା ଭେଟି ଘେନିଆସି ଆପଣଙ୍କ ସମ୍ମୁଖରେ ଥୋଇବା ପର୍ଯ୍ୟନ୍ତ ଏ ସ୍ଥାନରୁ ପ୍ରସ୍ଥାନ କରନ୍ତୁ ନାହିଁ।” ତହିଁରେ ସେ କହିଲେ, “ତୁମ୍ଭେ ଫେରି ଆସିବା ଯାଏ ଆମ୍ଭେ ରହିବା।” 19ତହୁଁ ଗିଦିୟୋନ୍ ଭିତରକୁ ଯାଇ ଏକ ଛେଳିଛୁଆ ଓ ଏକ ଐଫା ମଇଦାର ତାଡ଼ିଶୂନ୍ୟ ପିଠା ପ୍ରସ୍ତୁତ କଲେ; ମାଂସ ଗୋଟିଏ ଡାଲାରେ ଓ ଝୋଳ ଗୋଟିଏ କହ୍ରାଇରେ ରଖି ବାହାରେ ତାହାଙ୍କ ନିକଟକୁ ଆଣି ଅଲୋନ ବୃକ୍ଷ ମୂଳେ ଥୋଇଲେ। 20ତହୁଁ ପରମେଶ୍ୱରଙ୍କ ଦୂତ ତାଙ୍କୁ କହିଲେ, “ଏହି ମାଂସ ଓ ତାଡ଼ିଶୂନ୍ୟ ପିଠାସବୁ ନେଇ ଏହି ଶୈଳ ଉପରେ ରଖ ଓ ତହିଁ ଉପରେ ଝୋଳ ଢାଳ;” ତହୁଁ ସେ ସେପରି କଲେ। 21ତେବେ ସଦାପ୍ରଭୁଙ୍କ ଦୂତ ଆପଣା ହସ୍ତସ୍ଥିତ ଯଷ୍ଟିର ଅଗ୍ର ବଢ଼ାଇ ସେହି ମାଂସ ଓ ତାଡ଼ିଶୂନ୍ୟ ପିଠା ସ୍ପର୍ଶ କଲେ; ଏଥିରେ ସେହି ଶୈଳରୁ ଅଗ୍ନି ବାହାରି ସେହି ମାଂସ ଓ ତାଡ଼ିଶୂନ୍ୟ ପିଠା ଦଗ୍ଧ କଲା; ତହୁଁ ସଦାପ୍ରଭୁଙ୍କ ଦୂତ ତାହାର ଦୃଷ୍ଟିଗୋଚରରୁ ପ୍ରସ୍ଥାନ କଲେ। 22ତହିଁରେ ସେ ଯେ ସଦାପ୍ରଭୁଙ୍କ ଦୂତ, ଏହା ଗିଦିୟୋନ୍ ବୁଝିଲେ; ପୁଣି ଗିଦିୟୋନ୍ କହିଲେ, “ହାୟ ହାୟ! ହେ ପ୍ରଭୋ ସଦାପ୍ରଭୋ, ମୁଁ ସମ୍ମୁଖାସମ୍ମୁଖୀ ହୋଇ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖିଲି।” 23ତହିଁରେ ସଦାପ୍ରଭୁ ତାଙ୍କୁ କହିଲେ, “ତୁମ୍ଭର ଶାନ୍ତି ହେଉ; ଭୟ ନ କର; ତୁମ୍ଭେ ମରିବ ନାହିଁ।” 24ତହୁଁ ଗିଦିୟୋନ୍ ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କଲେ, ତହିଁର ନାମ ଯିହୋବାଃ ଶାଲୋମ୍ ରଖିଲେ; ତାହା ଅବୀୟେଷ୍ରୀୟମାନଙ୍କ ଅଫ୍ରାରେ ଆଜି ପର୍ଯ୍ୟନ୍ତ ଅଛି।
ପ୍ରତିଉତ୍ତର ଗୀତ
8ସଦାପ୍ରଭୁ ପରମେଶ୍ୱର ଯାହା କହିବେ, ତାହା ଆମ୍ଭେ ଶୁଣିବୁ; କାରଣ ସେ ଆପଣା ଲୋକମାନଙ୍କୁ ଓ ଆପଣା ସଦ୍ଭକ୍ତମାନଙ୍କୁ ଶାନ୍ତିର କଥା କହିବେ; ମାତ୍ର ସେମାନେ ପୁନର୍ବାର ମୂର୍ଖତା ପ୍ରତି ନ ଫେରନ୍ତୁ। 10ଦୟା ଓ ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି; ଧର୍ମ ଓ ଶାନ୍ତି ପରସ୍ପର ଚୁମ୍ବନ କରିଅଛନ୍ତି। 11ପୃଥିବୀରୁ ସତ୍ୟତା ଅଙ୍କୁରିତ ହେଉଅଛି; ପୁଣି, ଧାର୍ମିକତା ସ୍ୱର୍ଗରୁ ଦୃଷ୍ଟିପାତ କରିଅଛି। 12ସଦାପ୍ରଭୁ ମଙ୍ଗଳ ପ୍ରଦାନ କରିବେ; ତହିଁରେ ଆମ୍ଭମାନଙ୍କ ଦେଶ ଫଳ ଉତ୍ପନ୍ନ କରିବ। 13ଧର୍ମ ତାହାଙ୍କର ଆଗେ ଆଗେ ଯିବ ଓ ତାହାଙ୍କ ପଦଚିହ୍ନକୁ ଗମନର ପଥ କରିବ।
ସୁସମାଚାର
23ସେଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଧନୀ ଲୋକ ଅତି କଷ୍ଟରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ। 24ପୁନଶ୍ଚ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ବରଙ୍କ ରାଜ୍ୟରେ ଧନୀଲୋକଙ୍କର ପ୍ରବେଶ କରିବା ଅପେକ୍ଷା ବରଂ ଛୁଞ୍ଚିର ଛିଦ୍ର ଦେଇ ଓଟର ପ୍ରବେଶ କରିବା ସହଜ।” 25ଶିଷ୍ୟମାନେ ଏହା ଶୁଣି ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ତେବେ କିଏ ପରିତ୍ରାଣ ପାଇ ପାରେ? 26ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, “ଏହା ମନୁଷ୍ୟର ଅସାଧ୍ୟ, କିନ୍ତୁ ଈଶ୍ବରଙ୍କର ସମସ୍ତ ସାଧ୍ୟ।” 27ସେଥିରେ ପିତର ତାହାଙ୍କୁ ଉତ୍ତର ଦେଲେ, ଦେଖନ୍ତୁ, ଆମ୍ଭେମାନେ ସମସ୍ତ ପରିତ୍ୟାଗ କରି ଆପଣଙ୍କ ଅନୁଗାମୀ ହୋଇଅଛୁ; ଆମ୍ଭେମାନେ ତେବେ କଅଣ ପାଇବା? 28ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ନୂତନ ସୃଷ୍ଟିରେ ଯେତେବେଳେ ମନୁଷ୍ୟପୁତ୍ର ଆପଣା ଗୌରବମୟ ସିଂହାସନରେ ଉପବେଶନ କରିବେ, ସେତେବେଳେ, ମୋହର ଅନୁଗାମୀ ହୋଇଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦ୍ୱାଦଶ ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ।” 29“ପୁଣି, ଯେ କେହି ମୋହର ନାମ ସକାଶେ ଗୃହ କି ଭାଇ କି ଭଉଣୀ କି ପିତା କି ମାତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରେ, ସେ ବହୁଗୁଣ ପାଇବ, ପୁଣି, ଅନନ୍ତ ଜୀବନର ଅଧିକାରୀ ହେବ। 30କିନ୍ତୁ ପ୍ରଥମେ ଥିବା ଅନେକ ଲୋକ ଶେଷରେ ପଡ଼ିବେ ଓ ଶେଷରେ ଥିବା ଅନେକ ଲୋକ ପ୍ରଥମ ହେବେ।”
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର