ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 22
ଅର୍ଥୋଡକ୍ସ ପଞ୍ଜିକା · 9 ଅଗଷ୍ଟ (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 22 ଅଗଷ୍ଟ 2027
ରବିବାର · ସ୍ୱର 8
ପର୍ବ ଓ ସନ୍ଥ
ପେଣ୍ଟିକଷ୍ଟ ପରେ ନବମ ରବିବାର
ଶୟନ ପର୍ବର ଉପବାସ
ଉପବାସ: ତେଲ ସହିତ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପ୍ରଭାତୀ ପ୍ରାର୍ଥନାର ନବମ ସୁସମାଚାର
19ସେହି ଦିନ, ଅର୍ଥାତ୍, ସପ୍ତାହର ପ୍ରଥମ ଦିନ ସନ୍ଧ୍ୟା ସମୟରେ ଯେତେବେଳେ ଶିଷ୍ୟମାନେ ଯେଉଁ ଗୃହରେ ଥିଲେ, ସେଥିର ଦ୍ୱାରଗୁଡ଼ିକ ଯିହୁଦୀମାନଙ୍କ ଭୟରେ ରୁଦ୍ଧ ଥିଲା, ସେତେବେଳେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ।” 20ପୁଣି, ଏହା କହି ସେ ସେମାନଙ୍କୁ ଆପଣା ହସ୍ତ ଓ କକ୍ଷଦେଶ ଦେଖାଇଲେ। ସେଥିରେ ଶିଷ୍ୟମାନେ ପ୍ରଭୁଙ୍କୁ ଦେଖି ଆନନ୍ଦିତ ହେଲେ। 21ଯୀଶୁ ସେମାନଙ୍କୁ ପୁନର୍ବାର କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ; ପିତା ଯେପ୍ରକାରେ ମୋତେ ପ୍ରେରଣ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାରେ ତୁମ୍ଭମାନଙ୍କୁ ପ୍ରେରଣ କରୁଅଛି।” 22ସେ ଏହା କହି ସେମାନଙ୍କ ଉପରେ ପ୍ରଶ୍ୱାସ ଛାଡ଼ି ସେମାନଙ୍କୁ କହିଲେ, “ପବିତ୍ର ଆତ୍ମାଙ୍କୁ ଗ୍ରହଣ କର। 23ତୁମ୍ଭେମାନେ ଯଦି କାହାରି ପାପ କ୍ଷମା କରିବ, ତାହାର ପାପ କ୍ଷମା ହେବ; ପୁଣି, ଯଦି କାହାରି ପାପ କ୍ଷମା ନ କରିବ, ତାହାର ପାପ କ୍ଷମା ହେବ ନାହିଁ।” 24କିନ୍ତୁ ଯୀଶୁ ଯେତେବେଳେ ଆସିଥିଲେ, ସେତେବେଳେ ଦ୍ୱାଦଶଙ୍କ ମଧ୍ୟରୁ ଥୋମା ନାମକ ଜଣେ, ଯାହାଙ୍କୁ ଦିଦୁମ କହନ୍ତି, ସେ ସେମାନଙ୍କ ସାଙ୍ଗରେ ନ ଥିଲେ। 25ଅତଏବ, ଅନ୍ୟ ଶିଷ୍ୟମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ପ୍ରଭୁଙ୍କୁ ଦେଖିଅଛୁ। କିନ୍ତୁ ସେ ସେମାନଙ୍କୁ କହିଲେ, ତାହାଙ୍କ ହାତରେ କଣ୍ଟାର ଚିହ୍ନସବୁ ନ ଦେଖିଲେ ଓ ସେହିସବୁ ସ୍ଥାନରେ ମୋହର ଅଙ୍ଗୁଳି ନ ଦେଲେ ଏବଂ ତାହାଙ୍କ କକ୍ଷଦେଶରେ ମୋହର ହାତ ନ ଦେଲେ ମୁଁ କଦାପି ବିଶ୍ୱାସ କରିବି ନାହିଁ। 26ଆଠ ଦିନ ପରେ ତାହାଙ୍କ ଶିଷ୍ୟମାନେ ପୁନର୍ବାର ଭିତରେ ଥିଲେ ଓ ଥୋମା ସେମାନଙ୍କ ସାଙ୍ଗରେ ଥିଲେ। ଦ୍ୱାରସବୁ ରୁଦ୍ଧ ଥିବା ସମୟରେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, “ତୁମ୍ଭମାନଙ୍କର ଶାନ୍ତି ହେଉ।” 27ପରେ ସେ ଥୋମାଙ୍କୁ କହିଲେ, “ଏଆଡ଼େ ତୁମ୍ଭର ଅଙ୍ଗୁଳି ବଢ଼ାଇ ମୋହର ହାତ ଦେଖ ଓ ହାତ ବଢ଼ାଇ ମୋହର କକ୍ଷଦେଶରେ ଦିଅ; ଅବିଶ୍ୱାସୀ ନ ହୋଇ ବିଶ୍ୱାସୀ ହୁଅ।” 28ଥୋମା ତାହାଙ୍କୁ ଉତ୍ତର ଦେଲେ, ମୋହର ପ୍ରଭୁ, ମୋହର ଈଶ୍ବର। 29ଯୀଶୁ ତାହାଙ୍କୁ କହିଲେ, “ତୁମ୍ଭେ ମୋତେ ଦେଖିବାରୁ ବିଶ୍ୱାସ କରିଅଛ? ଯେଉଁମାନେ ନ ଦେଖି ବିଶ୍ୱାସ କରିଅଛନ୍ତି, ସେମାନେ ଧନ୍ୟ।” 30ଯୀଶୁ ଶିଷ୍ୟମାନଙ୍କ ସାକ୍ଷାତରେ ଏହିପରି ଅନେକ ଓ ବିଭିନ୍ନ ପ୍ରକାର ଆଶ୍ଚର୍ଯ୍ୟକର୍ମ ସାଧନ କଲେ, ସେହିସବୁ ଏହି ପୁସ୍ତକରେ ଲେଖା ହୋଇ ନାହିଁ; 31କିନ୍ତୁ ତୁମ୍ଭେମାନେ ଯେପରି ବିଶ୍ୱାସ କର ଯେ, ଯୀଶୁ ଈଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ ଅଟନ୍ତି, ପୁଣି, ବିଶ୍ୱାସ କରି ଯେପରି ତୁମ୍ଭେମାନେ ତାହାଙ୍କ ନାମରେ ଜୀବନ ପ୍ରାପ୍ତ ହୁଅ, ଏଥିନିମନ୍ତେ ଏସମସ୍ତ ଲେଖାଯାଇଅଛି।
ପତ୍ର
9କାରଣ ଆମ୍ଭେମାନେ ଈଶ୍ବରଙ୍କ ସହକର୍ମୀ ତୁମ୍ଭେମାନେ ଈଶ୍ବରଙ୍କ କ୍ଷେତ୍ର, ଈଶ୍ବରଙ୍କ ଗୃହ। 10ମୋତେ ଦିଆଯାଇଥିବା ଈଶ୍ବରଙ୍କ ଅନୁଗ୍ରହ ଅନୁସାରେ ମୁଁ ଜଣେ ବୁଦ୍ଧିମାନ ଗୃହ ନିର୍ମାଣକାରୀ ତୁଲ୍ୟ ଭିତ୍ତିମୂଳ ସ୍ଥାପନ କରେ, ଅନ୍ୟ ଜଣେ ତାହା ଉପରେ ନିର୍ମାଣ କରେ। କିନ୍ତୁ ପ୍ରତ୍ୟେକ ଲୋକ ତାହା ଉପରେ କିପରି ନିର୍ମାଣ କରେ, ସେ ସମ୍ବନ୍ଧରେ ସାବଧାନ ହେଉ। 11କାରଣ ଯେଉଁ ଭିତ୍ତିମୂଳ ସ୍ଥାପିତ ହୋଇଅଛି, ତାହା ବ୍ୟତୀତ ଅନ୍ୟ ଭିତ୍ତିମୂଳ କେହି ସ୍ଥାପନ କରିପାରେ ନାହିଁ, ସେହି ଭିତ୍ତିମୂଳ ଯୀଶୁ ଖ୍ରୀଷ୍ଟ। 12କିନ୍ତୁ ଯଦି କେହି ସେହି ଭିତ୍ତିମୂଳ ଉପରେ ସୁନା, ରୂପା, ବହୁମୂଲ୍ୟ ପଥର, କାଠ, ଘାସ ବା ଛଣ ଦେଇ ନିର୍ମାଣ କରେ, 13ତାହାହେଲେ ପ୍ରତ୍ୟେକ ଜଣର କର୍ମ କି ପ୍ରକାର, ତାହା ପ୍ରକାଶ ପାଇବ, କାରଣ ସେହି ଦିନ ତାହା ପ୍ରକାଶ କରିବ, ଯେଣୁ ସେହି ଦିନ ଅଗ୍ନି ସହିତ ପ୍ରକାଶିତ ହେବ, ଆଉ ପ୍ରତ୍ୟେକ ଲୋକର କର୍ମ କି ପ୍ରକାର, ସେହି ଅଗ୍ନି ପରୀକ୍ଷା କରିବ। 14ଯେ ଯାହା ନିର୍ମାଣ କରିଅଛି, ତାହାର ସେହି କର୍ମ ଯଦି ରହିବ, ତେବେ ସେ ପୁରସ୍କାର ପାଇବ; 15ଯଦି କାହାରି କର୍ମ ପୋଡ଼ିଯିବ, ତାହାର କ୍ଷତି ହେବ, ତଥାପି ସେ ନିଜେ ରକ୍ଷା ପାଇବ, କିନ୍ତୁ ତାହା ଅଗ୍ନି ମଧ୍ୟ ଦେଇ ଗମନ କଲା ପରି ହେବ। 16ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଈଶ୍ବରଙ୍କ ମନ୍ଦିର, ଆଉ ଈଶ୍ବରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି; 17ଯଦି କୌଣସି ଲୋକ ଈଶ୍ବରଙ୍କ ମନ୍ଦିରକୁ ନଷ୍ଟ କରେ, ତେବେ ଈଶ୍ବର ତାହାକୁ ନଷ୍ଟ କରିବେ କାରଣ ଈଶ୍ବରଙ୍କ ମନ୍ଦିର ପବିତ୍ର, ସେହି ମନ୍ଦିର ତୁମ୍ଭେମାନେ।
ସୁସମାଚାର
22ସେହିକ୍ଷଣି ଯୀଶୁ ଶିଷ୍ୟମାନଙ୍କୁ ନୌକାରେ ଚଢ଼ି ତାହାଙ୍କ ଆଗରେ ଅପର ପାରିକୁ ଯିବା ପାଇଁ ବଳାଇଲେ, ପୁଣି, ସେ ଇତିମଧ୍ୟରେ ଲୋକସମୂହକୁ ବିଦାୟ ଦେଲେ। 23ଲୋକସମୂହକୁ ବିଦାୟ ଦେଲା ପରେ ସେ ପ୍ରାର୍ଥନା କରିବା ପାଇଁ ବାହାରିଯାଇ ପର୍ବତ ଉପରକୁ ଗଲେ, ଆଉ ସନ୍ଧ୍ୟା ହେଲା ପରେ ସେ ସେଠାରେ ଏକାକୀ ଥିଲେ। 24କିନ୍ତୁ ନୌକା ସେତେବେଳେ କୂଳରୁ ଅନେକ ଦୂରରେ ଥିଲା ଏବଂ ପ୍ରତିକୂଳ ବାୟୁ ହେତୁ ତାହା ଟଳମଳ ହେଉଥିଲା। 25କିନ୍ତୁ ରାତ୍ରିର ଚତୁର୍ଥ ପ୍ରହରରେ ଯୀଶୁ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ, 26ପୁଣି, ଶିଷ୍ୟମାନେ ତାହାଙ୍କୁ ସମୁଦ୍ର ଉପରେ ଚାଲିବାର ଦେଖି ଉଦ୍ବିଗ୍ନ ହୋଇ କହିଲେ, ଏ ତ ଭୂତ; ଆଉ, ସେମାନେ ଭୟରେ ଚିତ୍କାର କଲେ। 27କିନ୍ତୁ ଯୀଶୁ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି କହିଲେ “ସାହସ ଧର ଏ ତ ମୁଁ, ଭୟ କର ନାହିଁ।” 28ସେଥିରେ ପିତର ଉତ୍ତର ଦେଲେ, ହେ ପ୍ରଭୁ, ଯେବେ ଆପଣ, ତେବେ ଜଳ ଉପରେ ଆପଣଙ୍କ ପାଖକୁ ଯିବା ପାଇଁ ମୋତେ ଆଜ୍ଞା କରନ୍ତୁ। 29ସେ କହିଲେ, “ଆସ।” ସେଥିରେ ପିତର ନୌକାରୁ ଓହ୍ଲାଇ ଜଳ ଉପରେ ଚାଲି ଯୀଶୁଙ୍କ ପାଖକୁ ଗଲେ। 30ମାତ୍ର ସେ ପବନ ଦେଖି ଭୟ କଲେ, ପୁଣି, ବୁଡ଼ି ଯାଉ ଯାଉ ଚିତ୍କାର କରି କହିଲେ, ହେ ପ୍ରଭୁ, ମୋତେ ରକ୍ଷା କରନ୍ତୁ। 31ଯୀଶୁ ସେହିକ୍ଷଣି ହାତ ବଢ଼ାଇ ତାହାକୁ ଧରି କହିଲେ, “ହେ ଅଳ୍ପ ବିଶ୍ୱାସୀ କାହିଁକି ସନ୍ଦେହ କଲ?” 32ପୁଣି, ସେମାନେ ନୌକାରେ ଚଢ଼ନ୍ତେ, ପବନ ବନ୍ଦ ହେଲା। 33ସେଥିରେ ନୌକାରେ ଥିବା ଲୋକମାନେ ତାହାଙ୍କୁ ପ୍ରଣାମ କରି କହିଲେ, ଆପଣ ନିଶ୍ଚୟ ଈଶ୍ବରଙ୍କ ପୁତ୍ର। 34ସେମାନେ ସମୁଦ୍ର ପାର ହୋଇ ଗିନ୍ନେସରତ ଅଞ୍ଚଳରେ ପହଞ୍ଚିଲେ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅଗଷ୍ଟ 9 ନାଗରିକ ପଞ୍ଜିକାର ଅଗଷ୍ଟ 22। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର