Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅଗଷ୍ଟ 2027 › ଅଗଷ୍ଟ 29

ଅର୍ଥୋଡକ୍ସ ପଞ୍ଜିକା · 16 ଅଗଷ୍ଟ (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 29 ଅଗଷ୍ଟ 2027

ରବିବାର · ସ୍ୱର 1

ପର୍ବ ଓ ସନ୍ଥ

ପେଣ୍ଟିକଷ୍ଟ ପରେ ଦଶମ ରବିବାର

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପ୍ରଭାତୀ ପ୍ରାର୍ଥନାର ଦଶମ ସୁସମାଚାର

ଯୋହ 21:1–14

1ଏଥିଉତ୍ତାରେ ଯୀଶୁ ତିବିରୀୟା ହ୍ରଦର କୂଳରେ ଶିଷ୍ୟମାନଙ୍କୁ ପୁନର୍ବାର ଦର୍ଶନ ଦେଲେ। ସେ ଏହି ପ୍ରକାରେ ଦର୍ଶନ ଦେଲେ; 2ଶିମୋନ ପିତର, ଥୋମା, ଯାହାଙ୍କୁ ଦିଦୁମ କହନ୍ତି, ଗାଲିଲୀର କାନ୍ନାନିବାସୀ ନିଥନିୟେଲ, ଜେବଦୀଙ୍କ ପୁତ୍ରମାନେ ଓ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଦୁଇ ଜଣ ଏକତ୍ର ଥିଲେ। 3ଶିମୋନ ପିତର ସେମାନଙ୍କୁ କହିଲେ, ମୁଁ ମାଛ ଧରିବାକୁ ଯାଉଅଛି। ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ମଧ୍ୟ ତୁମ୍ଭ ସାଙ୍ଗରେ ଯିବୁ। ସେମାନେ ବାହାରିଯାଇ ନୌକାରେ ଚଢ଼ିଲେ, ଆଉ ସେହି ରାତିରେ କିଛି ଧରି ପାରିଲେ ନାହିଁ। 4କିନ୍ତୁ ପାହାନ୍ତା ହେଲା ଉତ୍ତାରେ ଯୀଶୁ କୂଳରେ ଠିଆ ହେଲେ; ତଥାପି ସେ ଯୀଶୁ ବୋଲି ଶିଷ୍ୟମାନେ ଜାଣିଲେ ନାହିଁ। 5ଯୀଶୁ ସେମାନଙ୍କୁ କହିଲେ, “ପିଲାମାନେ ତୁମ୍ଭମାନଙ୍କ ପାଖରେ କଅଣ କିଛି ଖାଇବାର ଅଛି?” ସେମାନେ ତାହାଙ୍କୁ ଉତ୍ତର ଦେଲେ, ନାହିଁ। 6ସେ ସେମାନଙ୍କୁ କହିଲେ, “ନୌକାର ଡାହାଣ ପାଖରେ ଜାଲ ପକାଅ, ଆଉ ତୁମ୍ଭେମାନେ ପାଇବ।” ସେଥିରେ ସେମାନେ ଜାଲ ପକାଇଲେ, ଆଉ ଏତେ ମାଛ ପଡ଼ିଲା ଯେ, ସେମାନେ ତାହା ଟାଣି ପାରିଲେ ନାହିଁ। 7ସେଥିରେ ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ, ସେ ପିତରଙ୍କୁ କହିଲେ, ଏ ତ ପ୍ରଭୁ। ଶିମୋନ ପିତର ଏ ତ ପ୍ରଭୁ ବୋଲି ଶୁଣି ଅଙ୍ଗରଖା ନ ପିନ୍ଧି ଥିବାରୁ ଆପଣା ଅଙ୍ଗରଖା ପିନ୍ଧି ସମୁଦ୍ରକୁ ଡେଇଁପଡ଼ିଲେ; 8କିନ୍ତୁ ଅନ୍ୟ ଶିଷ୍ୟମାନେ ନୌକାରେ ଭର୍ତ୍ତି ହୋଇଥିବା ମାଛର ଜାଲ ଟାଣି ଟାଣି ନୌକାକୁ ଆସିଲେ, କାରଣ ସେମାନେ କୂଳରୁ ଅଧିକ ଦୂରରେ ନ ଥିଲେ, କେବଳ ପ୍ରାୟ ଦୁଇ ଶହ ହାତ ଦୂରରେ ଥିଲେ। 9ସେମାନେ କୂଳରେ ଓହ୍ଲାଇ ସେଠାରେ ଅଙ୍ଗାରର ନିଆଁ, ପୁଣି, ତାହା ଉପରେ ଭଜା ମାଛ ଓ ରୁଟି ଥୁଆ ହୋଇଥିବା ଦେଖିଲେ। 10ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଏବେ ଯେଉଁ ମାଛ ଧରିଅଛ, ସେଥିରୁ କିଛି ଆଣ।” 11ଶିମୋନ ପିତର ଯାଇ ଏକ ଶହ ତେପନ ବଡ଼ ବଡ଼ ମାଛରେ ଭର୍ତ୍ତି ହୋଇଥିବା ଜାଲ କୂଳକୁ ଟାଣି ଆଣିଲେ; ଆଉ ଏତେ ମାଛରେ ସୁଦ୍ଧା ଜାଲ ଛିଣ୍ଡିଲା ନାହିଁ। 12ଯୀଶୁ ସେମାନଙ୍କୁ କହିଲେ, “ଆସି ଭୋଜନ କର।” ଶିଷ୍ୟମାନଙ୍କ ମଧ୍ୟରୁ କେହି ତୁମ୍ଭେ କିଏ ବୋଲି ତାହାଙ୍କୁ ପଚାରିବାକୁ ସାହସ କରୁ ନ ଥିଲେ, କାରଣ ସେ ଯେ ପ୍ରଭୁ, ଏହା ସେମାନେ ଜାଣିଥିଲେ। 13ଯୀଶୁ ଆସି ରୁଟି ଘେନି ସେମାନଙ୍କୁ ଦେଲେ, ଆଉ ସେହି ପ୍ରକାରେ ମାଛ ମଧ୍ୟ ଦେଲେ। 14ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ଯୀଶୁ ଶିଷ୍ୟମାନଙ୍କୁ ଏହି ତୃତୀୟ ଥର ଦର୍ଶନ ଦେଲେ।

ପତ୍ର

ପ୍ର.କରି 4:9–16

9କାରଣ ମୋହର ମନେ ହୁଏ, ଆମ୍ଭେମାନେ ଯେ ପ୍ରେରିତ, ଆମ୍ଭମାନଙ୍କୁ ଈଶ୍ବର ମୃତ୍ୟୁମୁଖରେ ସମର୍ପିତ ସର୍ବଶେଷର ଲୋକମାନଙ୍କ ସଦୃଶ ପ୍ରଦର୍ଶନ କରିଅଛନ୍ତି, ଯେଣୁ ଆମ୍ଭେମାନେ ଜଗତ, ଦୂତ ଓ ମନୁଷ୍ୟମାନଙ୍କ ନିକଟରେ କୌତୁକର ବିଷୟ ହୋଇଅଛୁ। 10ଆମ୍ଭେମାନେ ଖ୍ରୀଷ୍ଟଙ୍କ ନିମନ୍ତେ ମୂର୍ଖ, କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ବୁଦ୍ଧିମାନ; ଆମ୍ଭେମାନେ ଦୁର୍ବଳ, କିନ୍ତୁ ତୁମ୍ଭେମାନେ ବଳବାନ; ତୁମ୍ଭେମାନେ ଗୌରବପ୍ରାପ୍ତ, କିନ୍ତୁ ଆମ୍ଭେମାନେ ଅନାଦୃତ। 11ଏ ସମୟ ପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ କ୍ଷୁଧିତ ଓ ତୃଷିତ, ବସ୍ତ୍ରହୀନ ଓ ପ୍ରହାରିତ ହେଉଅଛୁ, ପୁଣି, ନିରାଶ୍ରୟ ହୋଇ ଭ୍ରମଣ କରୁ କରୁ 12ସ୍ୱହସ୍ତରେ କର୍ମ କରି ପରିଶ୍ରମ କରୁଅଛୁ, ନିନ୍ଦିତ ହୋଇ ଆଶୀର୍ବାଦ କରୁଅଛୁ, ତାଡ଼ନା ପ୍ରାପ୍ତ ହୋଇ ସହ୍ୟ କରୁଅଛୁ, 13ଅପବାଦିତ ହୋଇ ମିଳନର କଥା କହୁଅଛୁ; ଏପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ ଜଗତର ଆବର୍ଜନା, ସମସ୍ତଙ୍କର କଳଙ୍କ ସ୍ୱରୂପ ହୋଇଅଛୁ। 14ମୁଁ ତୁମ୍ଭମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଏହି ସମସ୍ତ ବିଷୟ ଲେଖୁ ନାହିଁ, କିନ୍ତୁ ମୋହର ପ୍ରିୟ ସନ୍ତାନ ବୋଲି ମନେ କରି ତୁମ୍ଭମାନଙ୍କୁ ଚେତନା ଦେବା ନିମନ୍ତେ ଏହି ସମସ୍ତ ଲେଖୁଅଛି। 15କାରଣ ଯଦ୍ୟପି ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ଦଶ ସହସ୍ର ଶିକ୍ଷକ ଥାଆନ୍ତେ, ତଥାପି ତୁମ୍ଭମାନଙ୍କର ଅନେକ ପିତା ନାହାନ୍ତି; କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ମୁଁ ତୁମ୍ଭମାନଙ୍କୁ ସୁସମାଚାର ଦ୍ୱାରା ଜନ୍ମ ଦେଇଅଛି। 16ଏଣୁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରେ, ତୁମ୍ଭେମାନେ ମୋହର ଅନୁକାରୀ ହୁଅ।

ପତ୍ର (ତ୍ରାଣକର୍ତ୍ତାଙ୍କ ଚିତ୍ର ପାଇଁ)

କଲ 1:12–18

12ପୁଣି, ଯେଉଁ ପିତା ଦୀପ୍ତିରେ ସାଧୁମାନଙ୍କ ଅଧିକାରର ସହଭାଗୀ ହେବା ନିମନ୍ତେ ତୁମ୍ଭମାନଙ୍କୁ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ଆନନ୍ଦ ସହିତ ଧନ୍ୟବାଦ ଦିଅ। 13ସେ ଆମ୍ଭମାନଙ୍କୁ ଅନ୍ଧକାରର କ୍ଷମତାରୁ ଉଦ୍ଧାର କରି ଆପଣା ପ୍ରେମପାତ୍ର ପୁତ୍ରଙ୍କ ରାଜ୍ୟ ମଧ୍ୟକୁ ସ୍ଥାନାନ୍ତର କରିଅଛନ୍ତି; 14ଯୀଶୁଙ୍କଠାରେ ଆମ୍ଭେମାନେ ମୁକ୍ତି, ଅର୍ଥାତ୍‍, ପାପ କ୍ଷମା ପାଇଅଛୁ। 15ସେ ଅଦୃଶ୍ୟ ଈଶ୍ବରଙ୍କ ପ୍ରତିମୂର୍ତ୍ତି, ସମସ୍ତ ସୃଷ୍ଟିର ପ୍ରଥମଜାତ, 16କାରଣ ଦୃଶ୍ୟ ଓ ଅଦୃଶ୍ୟ, ସ୍ୱର୍ଗରେ ଓ ପୃଥିବୀରେ ସମସ୍ତ ବିଷୟ ତାହାଙ୍କ ଦ୍ୱାରା ସୃଷ୍ଟି ହେଲା, ସିଂହାସନ କି ପ୍ରଭୁତ୍ୱ କି ଆଧିପତ୍ୟ କି କର୍ତ୍ତାପଣ, ସମସ୍ତ ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ ସୃଷ୍ଟ ହୋଇଅଛି; 17ସମସ୍ତ ବିଷୟ ସୃଷ୍ଟ ହେବା ପୂର୍ବରୁ ସେ ଅଛନ୍ତି ଓ ତାହାଙ୍କଠାରେ ସମସ୍ତ ବିଷୟର ଅସ୍ତିତ୍ୱ ଅଛି। 18ଆଉ, ସେ ମଣ୍ଡଳୀରୂପ ଶରୀରର ମସ୍ତକ ସ୍ୱରୂପ, ସେ ଆଦି, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ, ଯେପରି ସମସ୍ତ ବିଷୟରେ ସେ ଅଗ୍ରଗଣ୍ୟ ହୁଅନ୍ତି।

ସୁସମାଚାର

ମାଥି 17:14–23

14ପରେ ସେମାନେ ଲୋକମାନଙ୍କ ନିକଟକୁ ଆସନ୍ତେ ଜଣେ ଲୋକ ତାହାଙ୍କ ନିକଟକୁ ଆସି ଆଣ୍ଠୋଇପଡ଼ି କହିଲା, 15ହେ ପ୍ରଭୁ, ମୋହର ପୁଅକୁ ଦୟା କରନ୍ତୁ, କାରଣ ସେ ମୂର୍ଚ୍ଛାରୋଗରେ ବଡ଼ କଷ୍ଟ ପାଉଅଛି, ଯେଣୁ ସେ ଥରକୁଥର ନିଆଁରେ ଓ ଥରକୁଥର ପାଣିରେ ପଡ଼ୁଅଛି। 16ମୁଁ ଆପଣଙ୍କ ଶିଷ୍ୟମାନଙ୍କ ନିକଟକୁ ତାହାକୁ ଆଣିଥିଲି, ମାତ୍ର ସେମାନେ ତାହାକୁ ସୁସ୍ଥ କରିପାରିଲେ ନାହିଁ। 17ଯୀଶୁ ଉତ୍ତର ଦେଲେ, “ଆରେ ଅବିଶ୍ୱାସୀ ଓ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ରହିବି? କେତେ କାଳ ତୁମ୍ଭମାନଙ୍କ ବ୍ୟବହାର ସହିବି? ତାହାକୁ ଏଠିକି ମୋ ପାଖକୁ ଆଣ।” 18ଆଉ ଯୀଶୁ ଭୂତକୁ ଧମକାନ୍ତେ ସେ ତାହାଠାରୁ ବାହାରିଗଲା ଓ ବାଳକଟି ସେହି ମୁହୂର୍ତ୍ତରୁ ସୁସ୍ଥ ହେଲା। 19ଏହାପରେ ଶିଷ୍ୟମାନେ ଗୋପନରେ ଯୀଶୁଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ କାହିଁକି ତାହାକୁ ଛଡ଼ାଇ ପାରିଲୁ ନାହିଁ। 20ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ଅଳ୍ପ ବିଶ୍ୱାସ ସକାଶେ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ପର୍ବତକୁ ‘ଏଠାରୁ ସେଠାକୁ ଘୁଞ୍ଚିଯା’ ବୋଲି କହିଲେ ତାହା ଘୁଞ୍ଚିଯିବ, ଆଉ କିଛି ହିଁ ତୁମ୍ଭମାନଙ୍କର ଅସାଧ୍ୟ ହେବ ନାହିଁ। 21କିନ୍ତୁ ପ୍ରାର୍ଥନା ଓ ଉପବାସ ବିନା ଅନ୍ୟ କୌଣସି ଉପାୟରେ ଏପ୍ରକାର ଭୂତ ବାହାରିଯାଏ ନାହିଁ।” 22ଆଉ ସେମାନେ ଗାଲିଲୀରେ ଏକତ୍ର ହେବା ସମୟରେ ଯୀଶୁ ସେମାନଙ୍କୁ କହିଲେ, “ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଅଛନ୍ତି, 23ପୁଣି, ସେମାନେ ତାହାଙ୍କୁ ବଧ କରିବେ, ଆଉ ତୃତୀୟ ଦିବସରେ ସେ ଉଠିବେ। ଏଥିରେ ସେମାନେ ଅତ୍ୟନ୍ତ ଦୁଃଖିତ ହେଲେ।”

ସୁସମାଚାର (ତ୍ରାଣକର୍ତ୍ତାଙ୍କ ଚିତ୍ର ପାଇଁ)

ଲୂକ 9:51–56; 10:22–24

51ପରେ ଯେତେବେଳେ ଯୀଶୁଙ୍କର ସ୍ୱର୍ଗକୁ ଯିବାର ସମୟ ସମ୍ପୂର୍ଣ୍ଣ ହୋଇଆସୁଥିଲା, ସେତେବେଳେ ସେ ଯିରୂଶାଲମ ସହରକୁ ଯିବା ନିମନ୍ତେ ମନକୁ ଦୃଢ଼ କରି, 52ନିଜ ଆଗେ ଦୂତମାନଙ୍କୁ ପଠାଇଲେ, ସେମାନେ ଯାଇ ତାହାଙ୍କ ନିମନ୍ତେ ଆୟୋଜନ କରିବାକୁ ଶମିରୋଣୀୟମାନଙ୍କର ଗୋଟିଏ ଗ୍ରାମରେ ପ୍ରବେଶ କଲେ; 53କିନ୍ତୁ ସେ ଯିରୂଶାଲମ ସହରକୁ ଯିବା ନିମନ୍ତେ ମନସ୍ଥ କରିଅଛନ୍ତି ବୋଲି ଦେଖି ସେମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ। 54ଏହା ଦେଖି ଯାକୁବ ଓ ଯୋହନ, ଏହି ଦୁଇ ଶିଷ୍ୟ କହିଲେ, ପ୍ରଭୁ, [ଏଲୀୟ ମଧ୍ୟ ଯେପରି କରିଥିଲେ, ସେହିପରି] ଆକାଶରୁ ଅଗ୍ନି ପଡ଼ି ସେମାନଙ୍କୁ ବିନାଶ କରୁ, ଏହା ଆମ୍ଭେମାନେ କହିବୁ ବୋଲି କଅଣ ଆପଣଙ୍କର ଇଚ୍ଛା? 55କିନ୍ତୁ ସେ ବୁଲିପଡ଼ି ସେମାନଙ୍କୁ ଅନୁଯୋଗ କଲେ ଏବଂ କହିଲେ, ତୁମ୍ଭେମାନେ କେଉଁ ପ୍ରକାର ଆତ୍ମାର ଲୋକ, ଏହା ଜାଣୁ ନାହଁ। ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କର ପ୍ରାଣ ବିନାଶ କରିବାକୁ ନ ଆସି ବରଂ ରକ୍ଷା କରିବାକୁ ଆସିଅଛନ୍ତି। 56ତାହା ପରେ ସେମାନେ ଆଉ ଗୋଟିଏ ଗ୍ରାମକୁ ଗଲେ। 10:22“ମୋହର ପିତାଙ୍କ ଅଧିକାରର ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି; ଆଉ, ପୁତ୍ର କିଏ, ଏହା ପିତାଙ୍କ ବିନା କେହି ଜାଣେ ନାହିଁ, ପୁଣି, ପିତା କିଏ, ଏହା ପୁତ୍ରଙ୍କ ବିନା କେହି ଜାଣେ ନାହିଁ, ଆଉ ପୁତ୍ର ଯାହା ନିକଟରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।” 23ପୁଣି, ସେ ଶିଷ୍ୟମାନଙ୍କ ପ୍ରତି ବୁଲିପଡ଼ି କେବଳ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯାହା ଯାହା ଦେଖୁଅଛ, ସେହିସବୁ ଯେଉଁ ଚକ୍ଷୁ ଦେଖେ, ତାହା ଧନ୍ୟ। 24କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ ସେହିସବୁ ଅନେକ ଭାବବାଦୀ ଓ ରାଜା ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଯାହା ଶୁଣୁଅଛ ସେହିସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅଗଷ୍ଟ 16 ନାଗରିକ ପଞ୍ଜିକାର ଅଗଷ୍ଟ 29। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର