Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 19

ଅର୍ଥୋଡକ୍ସ ପଞ୍ଜିକା · 6 ସେପ୍ଟେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 19 ସେପ୍ଟେମ୍ବର 2027

ରବିବାର · ସ୍ୱର 4

ପର୍ବ ଓ ସନ୍ଥ

ପେଣ୍ଟିକଷ୍ଟ ପରେ 13ତମ ରବିବାର

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପ୍ରଭାତୀ ପ୍ରାର୍ଥନାର ଦ୍ୱିତୀୟ ସୁସମାଚାର

ମାର୍କ 16:1–8

1ବିଶ୍ରାମବାର ବିତିଗଲା ଉତ୍ତାରେ ମଗ୍‌ଦଲୀନୀ ମରୀୟମ, ଯାକୁବଙ୍କ ମାତା ମରୀୟମ ଓ ଶଲୋମୀ ସୁଗନ୍ଧିଦ୍ରବ୍ୟ କିଣିଲେ, ଯେପରି ସେମାନେ ଯାଇ ତାହାଙ୍କୁ ମଖାଇଦେଇ ପାରନ୍ତି। 2ପୁଣି, ସପ୍ତାହର ପ୍ରଥମ ଦିବସର ଅତି ପ୍ରତ୍ୟୁଷରେ ସେମାନେ ସମାଧି ନିକଟକୁ ଗଲେ, ସେତେବେଳେ ସୂର୍ଯ୍ୟ ଉଠିଲା। 3ସେମାନେ ପରସ୍ପରକୁ କହୁଥିଲେ, କିଏ ଆମ୍ଭମାନଙ୍କ ପାଇଁ ସମାଧି-ଦ୍ୱାରରୁ ପଥରଟା ଗଡ଼ାଇଦେବ? କାରଣ ତାହା ଅତି ବୃହତ ଥିଲା। 4ଏପରି ସମୟରେ ସେମାନେ ଚାହିଁ ଦେଖିଲେ ଯେ, ପଥର ଗଡ଼ାଇ ଦିଆଯାଇଅଛି। 5ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳ ବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ୱରେ ବସିଥିବା ଦେଖି ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହେଲେ। 6ସେଥିରେ ସେ ସେମାନଙ୍କୁ କହିଲେ, ଭୟ କର ନାହିଁ; ତୁମ୍ଭେମାନେ କ୍ରୁଶରେ ହତ ନାଜରିତୀୟ ଯୀଶୁଙ୍କର ଅନ୍ୱେଷଣ କରୁଅଛ; ସେ ଉଠିଅଛନ୍ତି, ସେ ଏଠାରେ ନାହାନ୍ତି; ଦେଖ, ଏହି ସ୍ଥାନରେ ସେମାନେ ତାହାଙ୍କୁ ରଖିଥିଲେ। 7କିନ୍ତୁ ତୁମ୍ଭେମାନେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଓ ପିତରଙ୍କୁ କୁହ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି; ଯୀଶୁ ତୁମ୍ଭମାନଙ୍କୁ ଯେପରି କହିଥିଲେ, ସେପରି ତୁମ୍ଭେମାନେ ତାହାଙ୍କୁ ସେଠାରେ ଦେଖିବ। 8ସେଥିରେ ସେମାନେ ବାହାରି ସମାଧି ନିକଟରୁ ପଳାଇଗଲେ, କାରଣ ସେମାନେ ଭୟରେ କମ୍ପୁଥିଲେ ଓ ଆଶ୍ଚର୍ଯ୍ୟ ହୋଇଥିଲେ, ପୁଣି, କାହାକୁ କିଛି କହିଲେ ନାହିଁ, ଯେଣୁ ସେମାନେ ଭୀତ ହୋଇଥିଲେ।

ପତ୍ର

ପ୍ର.କରି 16:13–24

13ତୁମ୍ଭେମାନେ ଜାଗ୍ରତ ରହି ବିଶ୍ୱାସରେ ସ୍ଥିର ହୋଇଥାଅ, ସାହସିକ ହୋଇ ବଳବାନ ହୁଅ। 14ତୁମ୍ଭମାନଙ୍କର ସମସ୍ତ କର୍ମ ପ୍ରେମରେ ସାଧିତ ହେଉ। 15ହେ ଭାଇମାନେ, ସ୍ତିଫାନଙ୍କ ପରିଜନବର୍ଗ ଯେ ଆଖାୟା ଅଞ୍ଚଳର ପ୍ରଥମ ମନ-ପରିବର୍ତ୍ତନ କରିଥିବା ସ୍ୱରୂପ; ପୁଣି, ସାଧୁମାନଙ୍କ ସେବାରେ ବ୍ରତୀ ହୋଇଅଛନ୍ତି, ଏହା ତୁମ୍ଭେମାନେ ଜାଣ; 16ଏହି ପ୍ରକାର ଲୋକମାନଙ୍କର, ପୁଣି, ପ୍ରତ୍ୟେକ ସହକର୍ମୀ ଓ ପରିଶ୍ରମୀ ଲୋକଙ୍କର ବଶୀଭୂତ ହୁଅ, ତୁମ୍ଭମାନଙ୍କୁ ଏହି ଅନୁରୋଧ କରୁଅଛି। 17ସ୍ତିଫାନା, ଫର୍ତ୍ତୂନାତ ଓ ଆଖାୟିକଙ୍କ ଆଗମନରେ ମୁଁ ଆନନ୍ଦ କରୁଅଛି, କାରଣ ତୁମ୍ଭମାନଙ୍କ ଅନୁପସ୍ଥିତ ହେତୁ ମୋହର ଯେଉଁ ଅଭାବ ଥିଲା, ତାହା ସେମାନେ ପୂରଣ କରିଅଛନ୍ତି, 18ଯେଣୁ ସେମାନେ ମୋହର ଓ ତୁମ୍ଭମାନଙ୍କ ଆତ୍ମାକୁ ସଞ୍ଜୀବିତ କରିଅଛନ୍ତି; ଅତଏବ, ତୁମ୍ଭେମାନେ ଏହି ପ୍ରକାର ଲୋକମାନଙ୍କୁ ଯୋଗ୍ୟ ଜାଣି ମାନ୍ୟ କର। 19ଏସିଆର ମଣ୍ଡଳୀ-ସମୂହ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ଆକ୍ୱିଲା ଓ ପ୍ରୀସ୍କା ସେମାନଙ୍କ ଗୃହସ୍ଥିତ ମଣ୍ଡଳୀ ସହିତ ପ୍ରଭୁଙ୍କଠାରେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। 20ଭାଇମାନେ ସମସ୍ତେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର। 21ମୁଁ ପାଉଲ ନିଜ ହାତରେ ଲେଖି ନମସ୍କାର ଜଣାଉଅଛି। 22ଯଦି କେହି ପ୍ରଭୁଙ୍କୁ ପ୍ରେମ ନ କରେ, ତେବେ ସେ ଶାପଗ୍ରସ୍ତ ହେଉ। 23ମାରାନାଥା। ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ; 24ଖ୍ରୀଷ୍ଟ ଯୀଶୁଙ୍କଠାରେ ମୋହର ପ୍ରେମ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ।

ସୁସମାଚାର

ମାଥି 21:33–42

33“ଆଉ ଗୋଟିଏ ଦୃଷ୍ଟାନ୍ତ ଶୁଣ। ଜଣେ ଗୃହକର୍ତ୍ତା ଥିଲେ, ସେ ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ଚାରିଆଡ଼େ ବାଡ଼ ଦେଲେ ଓ ତହିଁ ମଧ୍ୟରେ ଦ୍ରାକ୍ଷାକୁଣ୍ଡ ଖୋଳି ପ୍ରହରୀ-ଗୃହ ତିଆରି କଲେ, ପୁଣି, କୃଷକମାନଙ୍କୁ ସେହି କ୍ଷେତ୍ର ଭାଗରେ ଦେଇ ବିଦେଶକୁ ଚାଲିଗଲେ। 34ପରେ ଫଳର ସମୟ ପାଖେଇ ଆସନ୍ତେ ସେ ଆପଣା ଫଳ ପାଇବା ପାଇଁ କୃଷକମାନଙ୍କ ପାଖକୁ ନିଜ ଦାସମାନଙ୍କୁ ପଠାଇଲେ। 35କିନ୍ତୁ କୃଷକମାନେ ତାହାଙ୍କ ଦାସମାନଙ୍କୁ ଧରି ଜଣକୁ ପ୍ରହାର କଲେ, ଅନ୍ୟ ଜଣକୁ ବଧ କଲେ, ପୁଣି, ଆଉ ଜଣକୁ ପଥର ଫୋପାଡ଼ି ମାରିପକାଇଲେ। 36ପୁଣି, ଥରେ ସେ ପ୍ରଥମ ଥର ଅପେକ୍ଷା ଅଧିକ ସଂଖ୍ୟକ ଦାସ ପଠାଇଲେ, ଆଉ ସେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କଲେ। 37‘କିନ୍ତୁ ମୋହର ପୁଅକୁ ସେମାନେ ମାନ୍ୟ କରିବେ,’ ଏହା କହି ସେ ପରେ ଆପଣା ପୁତ୍ରକୁ ସେମାନଙ୍କ ନିକଟକୁ ପଠାଇଲେ। 38ମାତ୍ର ସେହି କୃଷକମାନେ ପୁତ୍ରଙ୍କୁ ଦେଖି ପରସ୍ପର କହିଲେ, ‘ଏ ତ ଉତ୍ତରାଧିକାରୀ; ଆସ, ଏହାକୁ ମାରି ଦେଇ ଆମ୍ଭେମାନେ ଏହାର ଅଧିକାର ଦଖଲ କରୁ।’ 39ଆଉ ସେମାନେ ତାହାଙ୍କୁ ଧରି ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇ ମାରିଦେଲେ। 40ଅତଏବ ଯେତେବେଳେ ସେହି ଦ୍ରାକ୍ଷାକ୍ଷେତ୍ରର ମାଲିକ ଆସିବେ, ସେତେବେଳେ ସେହି କୃଷକମାନଙ୍କ ପ୍ରତି ସେ କଅଣ କରିବେ?” 41ସେମାନେ ତାହାଙ୍କୁ କହିଲେ, ସେ ସେହି ଦୁଷ୍ଟମାନଙ୍କୁ ନିଷ୍ଠୁର ଭାବରେ ବିନାଶ କରିବେ ଓ ଯେଉଁ ଅନ୍ୟ କୃଷକମାନେ ତାହାଙ୍କୁ ଠିକ୍ ସମୟରେ ଫଳ ଯୋଗାଇବେ, ସେମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଭାଗରେ ଦେବେ। 42ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ କି କେବେ ହେଁ ଧର୍ମଶାସ୍ତ୍ରରେ ଏହି କଥା ପାଠ କରି ନାହଁ, ‘ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା; ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ?’

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ସେପ୍ଟେମ୍ବର 6 ନାଗରିକ ପଞ୍ଜିକାର ସେପ୍ଟେମ୍ବର 19। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର