ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ସେପ୍ଟେମ୍ବର 2027 › ସେପ୍ଟେମ୍ବର 30
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 30 ସେପ୍ଟେମ୍ବର 2027
ଗୁରୁବାର · ସାଧାରଣ କାଳର 26ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 26ତମ ସପ୍ତାହର ଗୁରୁବାର
ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା
ସନ୍ଥ ଜେରୋମ୍, ପୁରୋହିତ ଓ ମଣ୍ଡଳୀର ଆଚାର୍ଯ୍ୟ · ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
1ପୁଣି, ସମସ୍ତ ଲୋକ ଏକ ଉଦ୍ଦେଶ୍ୟରେ ଜଳଦ୍ୱାର ସମ୍ମୁଖସ୍ଥ ଛକରେ ଏକତ୍ରିତ ହେଲେ; ଆଉ, ସଦାପ୍ରଭୁ ଇସ୍ରାଏଲକୁ ମୋଶାଙ୍କର ଯେଉଁ ବ୍ୟବସ୍ଥା-ପୁସ୍ତକ ଆଜ୍ଞା କରିଥିଲେ, ତାହା ଆଣିବା ପାଇଁ ସେମାନେ ଏଜ୍ରା ଅଧ୍ୟାପକକୁ କହିଲେ। 2ତହିଁରେ ସପ୍ତମ ମାସର ପ୍ରଥମ ଦିନରେ, ଏଜ୍ରା ଯାଜକ ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ଶୁଣି ବୁଝି ପାରନ୍ତି, ସେ ସମସ୍ତ ସମାଜ ସାକ୍ଷାତକୁ ସେହି ବ୍ୟବସ୍ଥା-ପୁସ୍ତକ ଆଣିଲେ। 3ତହୁଁ ସେ ଜଳଦ୍ୱାର ସମ୍ମୁଖସ୍ଥ ଛକରେ, ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ବୁଝି ପାରନ୍ତି, ସେ ସମସ୍ତଙ୍କ ସାକ୍ଷାତରେ ପ୍ରଭାତରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ସେହି ପୁସ୍ତକରୁ ପାଠ କଲେ; ଆଉ, ସମସ୍ତ ଲୋକଙ୍କର କର୍ଣ୍ଣ ସେହି ବ୍ୟବସ୍ଥା-ପୁସ୍ତକ ପ୍ରତି ନିବିଷ୍ଟ ରହିଲା। 4ଆଉ, ଏଜ୍ରା ଅଧ୍ୟାପକ ସେହି କାର୍ଯ୍ୟ ନିମନ୍ତେ ନିର୍ମିତ କାଠର ମଞ୍ଚ ଉପରେ ଠିଆ ହେଲେ; ଆଉ, ଦକ୍ଷିଣ ପାର୍ଶ୍ୱରେ ତାହା ନିକଟରେ ମତ୍ତଥୀୟ, ଶେମା, ଅନାୟ, ଊରୀୟ, ହିଲ୍କୀୟ ଓ ମାସେୟ ଠିଆ ହେଲେ; ପୁଣି, ତାହାର ବାମ ପାର୍ଶ୍ଵରେ ପଦାୟ, ମୀଶାୟେଲ, ମଲ୍କୀୟ, ହଶୂମ, ହଶ୍ବଦ୍ଦାନା, ଜିଖରୀୟ ଓ ମଶୁଲ୍ଲମ୍ ଠିଆ ହେଲେ। 5ଏଉତ୍ତାରେ ଏଜ୍ରା ସମସ୍ତ ଲୋକଙ୍କ ଦୃଷ୍ଟିରେ ସେହି ପୁସ୍ତକ ଫିଟାଇଲେ; କାରଣ ସେ ସମସ୍ତ ଲୋକଙ୍କ ଊର୍ଦ୍ଧ୍ୱରେ ଠିଆ ହୋଇଥିଲେ; ପୁଣି, ସେ ପୁସ୍ତକ ଫିଟାନ୍ତେ, ସମସ୍ତ ଲୋକ ଠିଆ ହେଲେ। 6ତହୁଁ ଏଜ୍ରା ମହାନ ପରମେଶ୍ୱର ସଦାପ୍ରଭୁଙ୍କର ଧନ୍ୟବାଦ କଲେ। ପୁଣି, ସମସ୍ତ ଲୋକ ଆପଣା ଆପଣା ହସ୍ତ ଉଠାଇ ଆମେନ୍, ଆମେନ୍ ବୋଲି ଉତ୍ତର କଲେ; ଆଉ, ସେମାନେ ଆପଣା ଆପଣା ମସ୍ତକ ନତ କରି ସଦାପ୍ରଭୁଙ୍କୁ ଭୂମିଷ୍ଠ ପ୍ରଣାମ କଲେ। 7ଆହୁରି, ଯେଶୂୟ ଓ ବାନି ଓ ଶେରେବୀୟ, ଯାମୀନ୍, ଅକ୍କୂବ, ଶବ୍ବଥୟ, ହୋଦୀୟ, ମାସେୟ, କଲିଟ, ଅସରୀୟ, ଯୋଷାବଦ୍, ହାନନ୍, ପଲାୟ ଓ ଲେବୀୟମାନେ ଲୋକମାନଙ୍କୁ ବ୍ୟବସ୍ଥା ବୁଝାଇଦେଲେ; ଆଉ, ଲୋକମାନେ ଆପଣା ଆପଣା ସ୍ଥାନରେ ଠିଆ ହୋଇ ରହିଲେ। 8ପୁଣି, ସେମାନେ ସ୍ପଷ୍ଟରୂପେ ପରମେଶ୍ୱରଙ୍କ ବ୍ୟବସ୍ଥା-ପୁସ୍ତକରୁ ପାଠ କଲେ ଓ ସେମାନେ ତହିଁର ଭାବ ବୁଝାଇଦେଲେ, ତହୁଁ ଲୋକମାନେ ପଠନ ବୁଝି ପାରିଲେ। 9ପୁଣି, ଶାସନକର୍ତ୍ତା ନିହିମୀୟା ଓ ଅଧ୍ୟାପକ ଓ ଯାଜକ ଏଜ୍ରା ଓ ଲୋକମାନଙ୍କର ଶିକ୍ଷକ ଲେବୀୟମାନେ ସମସ୍ତ ଲୋକଙ୍କୁ କହିଲେ, “ଆଜି ଦିନ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ; ଶୋକ ନ କର କି ରୋଦନ ନ କର।” କାରଣ ବ୍ୟବସ୍ଥାର ବାକ୍ୟ ଶ୍ରବଣ କରନ୍ତେ, ସମସ୍ତ ଲୋକ ରୋଦନ କଲେ। 10ଆଉ, ନିହିମୀୟା ସେମାନଙ୍କୁ କହିଲା, “ଆପଣା ଆପଣା ପଥରେ ଯାଅ, ଚିକଣ ଦ୍ରବ୍ୟ ଭୋଜନ କର ଓ ମିଠା ଦ୍ରବ୍ୟ ପାନ କର ଓ ଯାହା ନିମନ୍ତେ କିଛି ପ୍ରସ୍ତୁତ ହୋଇ ନାହିଁ, ତାହା ନିକଟକୁ କିଛି ଅଂଶ ପଠାଅ; କାରଣ ଆଜିର ଦିନ ଆମ୍ଭମାନଙ୍କ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ, ତୁମ୍ଭେମାନେ ଦୁଃଖିତ ନ ହୁଅ; ଯେଣୁ ସଦାପ୍ରଭୁ ବିଷୟକ ଆନନ୍ଦ ତୁମ୍ଭମାନଙ୍କର ବଳ ଅଟେ।” 11ଏହିରୂପେ ଲେବୀୟମାନେ ସମସ୍ତ ଲୋକଙ୍କୁ ତୁନି କରାଇ କହିଲେ, “ନୀରବ ହୁଅ, ଆଜି ପବିତ୍ର ଦିନ! ତୁମ୍ଭେମାନେ ଦୁଃଖିତ ନ ହୁଅ।” 12ଏଉତ୍ତାରେ ଲୋକମାନେ ଆପଣାମାନଙ୍କ ନିକଟରେ ପ୍ରକାଶିତ ବାକ୍ୟସବୁ ବୁଝିବାରୁ ସେମାନେ ସମସ୍ତେ ଭୋଜନପାନ କରିବାକୁ ଓ କିଛି ଅଂଶ ପଠାଇବାକୁ ଓ ଅତିଶୟ ଆନନ୍ଦ କରିବାକୁ ଆପଣା ଆପଣା ପଥରେ ଗମନ କଲେ।
ପ୍ରତିଉତ୍ତର ଗୀତ
7ସଦାପ୍ରଭୁଙ୍କ ବ୍ୟବସ୍ଥା ସିଦ୍ଧ, ପ୍ରାଣର ସ୍ୱାସ୍ଥ୍ୟଜନକ; ସଦାପ୍ରଭୁଙ୍କ ପ୍ରମାଣ-ବାକ୍ୟ ଅଟଳ, ଅଳ୍ପ ବୁଦ୍ଧିର ଜ୍ଞାନଦାୟକ 8ସଦାପ୍ରଭୁଙ୍କର ବିଧିସବୁ ଯଥାର୍ଥ, ଚିତ୍ତର ଆନନ୍ଦଜନକ; ସଦାପ୍ରଭୁଙ୍କର ଆଜ୍ଞା ନିର୍ମଳ, ଚକ୍ଷୁର ଦୀପ୍ତିଦାୟକ। 9ସଦାପ୍ରଭୁଙ୍କ ଭୟ ଶୁଚି, ସଦାକାଳସ୍ଥାୟୀ। ସଦାପ୍ରଭୁଙ୍କ ଶାସନସକଳ ସତ୍ୟ ଓ ସର୍ବତୋଭାବେ ନ୍ୟାଯ୍ୟ। 10ତାହାସବୁ ସୁବର୍ଣ୍ଣ ଓ ପ୍ରଚୁର ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ବାଞ୍ଛନୀୟ; ଆଉ, ମଧୁ ଓ ମଧୁଚାକଠାରୁ ସୁମିଷ୍ଟ।
ସୁସମାଚାର
1ଏଥିଉତ୍ତାରେ ପ୍ରଭୁ ଆଉ ସତୁରି ଜଣଙ୍କୁ ନିଯୁକ୍ତ କଲେ ଓ ନିଜେ ଯେଉଁ ଯେଉଁ ନଗର ଓ ସ୍ଥାନକୁ ଯିବା ପାଇଁ ଉଦ୍ୟତ ଥିଲେ, ସେହି ସେହି ସ୍ଥାନକୁ ଦୁଇ ଦୁଇ ଜଣ କରି ସେମାନଙ୍କୁ ଆପଣା ଆଗେ ପଠାଇଲେ। 2ପୁଣି, ସେ ସେମାନଙ୍କୁ କହିଲେ, “ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ; ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ନିକଟରେ ନିବେଦନ କର। 3ତୁମ୍ଭେମାନେ ଯାଅ; ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାଛୁଆମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି। 4ଥଳି, ଝୋଲି ଓ ଜୋତା ନିଅ ନାହିଁ, ପୁଣି, ବାଟରେ କାହାକୁ ନମସ୍କାର କର ନାହିଁ। 5ଆଉ, ଯେକୌଣସି ଗୃହରେ ତୁମ୍ଭେମାନେ ପ୍ରବେଶ କରିବ, ପ୍ରଥମେ କୁହ, ଏହି ଗୃହ ପ୍ରତି ଶାନ୍ତି ହେଉ। 6ଆଉ, ସେ ସ୍ଥାନରେ ଯଦି ଜଣେ ଶାନ୍ତିର ପାତ୍ର ଥାଏ, ତାହାହେଲେ ତୁମ୍ଭମାନଙ୍କର ଶାନ୍ତି ତାହାର ଉପରେ ଅଧିଷ୍ଠାନ କରିବ; କିନ୍ତୁ ଯଦି ନ ଥାଏ, ତେବେ ତାହା ତୁମ୍ଭମାନଙ୍କ ନିକଟକୁ ଫେରିଆସିବ। 7ପୁଣି, ସେମାନଙ୍କ ପାଖରେ ଯାହା ଥାଏ, ତାହା ଭୋଜନପାନ କରି ସେହି ଗୃହରେ ରୁହ, କାରଣ କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ। ଘରକୁ ଘର ଯାଅ ନାହିଁ। 8ପୁଣି, ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି, ସେଠାରେ ତୁମ୍ଭମାନଙ୍କୁ ଯାହା ଦିଆଯାଏ, ତାହା ଭୋଜନ କର, 9ସେ ସ୍ଥାନରେ ଥିବା ପୀଡ଼ିତମାନଙ୍କୁ ସୁସ୍ଥ କର, ଆଉ ସେମାନଙ୍କୁ କୁହ, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ସନ୍ନିକଟ। 10କିନ୍ତୁ ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ନାହିଁ, ସେଥିର ଦାଣ୍ଡମାନଙ୍କୁ ବାହାରିଯାଇ କୁହ, 11ତୁମ୍ଭମାନଙ୍କ ନଗରର ଯେଉଁ ଧୂଳି ଆମ୍ଭମାନଙ୍କ ପାଦରେ ଲାଗିଅଛି, ତାହା ସୁଧା ତୁମ୍ଭମାନଙ୍କ ପାଇଁ ଝାଡ଼ି ଦେଉଅଛୁ; ତଥାପି ଈଶ୍ବରଙ୍କ ରାଜ୍ୟ ଯେ ସନ୍ନିକଟ, ଏହା ଜାଣିଥାଅ। 12ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ସେହି ନଗରର ଦଣ୍ଡ ଅପେକ୍ଷା ସଦୋମର ଦଣ୍ଡକୁ ସହି ହେବ।”
ଆଜିର ସନ୍ଥ
- ସନ୍ଥ ଜେରୋମ୍, ପୁରୋହିତ ଓ ମଣ୍ଡଳୀର ଆଚାର୍ଯ୍ୟ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର