Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 3

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 3 ଅକ୍ଟୋବର 2027

ରବିବାର · ସାଧାରଣ କାଳର 27ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 27ତମ ରବିବାର

ରବିବାର · ଉପାସନାର ରଙ୍ଗ: ସବୁଜ

ଦିନର ପାଠ

ପ୍ରଥମ ପାଠ

ଆଦି 2:18–24

18ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।” 19ଆଉ ସଦାପ୍ରଭୁ ପରମେଶ୍ୱର ଭୂମିରୁ ବିଲର ପଶୁଗଣ ଓ ଖେଚର ପକ୍ଷୀଗଣ ନିର୍ମାଣ କରି ଆଦମ ସେମାନଙ୍କୁ କି ନାମ ଦେବେ, ଏହା ଜାଣିବା ପାଇଁ ସମସ୍ତଙ୍କୁ ତାଙ୍କ ନିକଟକୁ ଆଣିଲେ। ତହିଁରେ ଆଦମ ସେହି ପ୍ରାଣୀବର୍ଗ ମଧ୍ୟରୁ ଯାହାକୁ ଯେଉଁ ନାମ ଦେଲେ, ତାହାର ସେହି ନାମ ହେଲା। 20ଏହିରୂପେ ଆଦମ ପଶୁ, ଖେଚର ପକ୍ଷୀ ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର, ମନୁଷ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହିଁ। 21ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଘୋର ନିଦ୍ରାଗ୍ରସ୍ତ କରାଇ ସେହି ନିଦ୍ରା ସମୟରେ ତାଙ୍କର ଖଣ୍ଡେ ପଞ୍ଜରା ନେଇ ମାଂସ ଦ୍ୱାରା ସେହି ସ୍ଥାନ ପୂର୍ଣ୍ଣ କଲେ। 22ଆଉ ସଦାପ୍ରଭୁ ପରମେଶ୍ୱର ଆଦମଙ୍କଠାରୁ ଯେଉଁ ପଞ୍ଜରା ଖଣ୍ଡିକ ନେଲେ, ତଦ୍ଦ୍ୱାରା ଏକ ସ୍ତ୍ରୀ ନିର୍ମାଣ କରି ଆଦମଙ୍କ ନିକଟକୁ ଆଣିଲେ। 23ତହୁଁ ଆଦମ କହିଲେ, “ଏଥର ହେଲା; ଏ ମୋହର ଅସ୍ଥିର ଅସ୍ଥି ଓ ମାଂସର ମାଂସ; ଏହାର ନାମ ନାରୀ, ଯେହେତୁ ଏ ନରଠାରୁ ନୀତା ହୋଇଅଛି।” 24ଏନିମନ୍ତେ ମନୁଷ୍ୟ ଆପଣା ପିତାମାତାଙ୍କୁ ଛାଡ଼ି ଆପଣା ଭାର୍ଯ୍ୟାଠାରେ ଆସକ୍ତ ହେବ, ଆଉ ସେମାନେ ଏକାଙ୍ଗ ହେବେ।

ପ୍ରତିଉତ୍ତର ଗୀତ

ଗୀତ 128:1–6

1ଆରୋହଣ ଗୀତ। ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ। 2କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ; ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ। 3ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ; ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଚାରିଆଡ଼େ ଜୀତବୃକ୍ଷର ଚାରା ପରି ହେବେ। 4ଦେଖ, ସଦାପ୍ରଭୁଙ୍କୁ ଭୟ କରିବା ଲୋକ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ। 5ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରିବେ; ଆଉ, ତୁମ୍ଭେ ଯାବଜ୍ଜୀବନ ଯିରୂଶାଲମର ମଙ୍ଗଳ ଦେଖିବ। 6ହଁ, ତୁମ୍ଭେ ଆପଣା ସନ୍ତାନଗଣର ସନ୍ତାନ ଦେଖିବ। ଇସ୍ରାଏଲ ଉପରେ ଶାନ୍ତି ବର୍ତ୍ତୁ।

ଦ୍ୱିତୀୟ ପାଠ

ଏବ୍ରୀ 2:9–11

9କିନ୍ତୁ ଦୂତମାନଙ୍କ ଅପେକ୍ଷା ଯେ ଅଳ୍ପ ସମୟ ନ୍ୟୂନୀକୃତ ହୋଇଥିଲେ, ତାହାଙ୍କୁ, ଅର୍ଥାତ୍‍, ଯୀଶୁଙ୍କୁ ମୃତ୍ୟୁର ଦୁଃଖଭୋଗ ହେତୁ ଗୌରବ ଓ ସମ୍ଭ୍ରମରୂପ ମୁକୁଟ ପରିଧାନ କରିଥିବାର ଦେଖୁଅଛୁ, ଯେପରି ଈଶ୍ବରଙ୍କ ଅନୁଗ୍ରହରେ ପ୍ରତ୍ୟେକ ମନୁଷ୍ୟ ନିମନ୍ତେ ସେ ମୃତ୍ୟୁ ଆସ୍ୱାଦନ କରନ୍ତି। 10କାରଣ ଯାହାଙ୍କ ନିମନ୍ତେ ଓ ଯାହାଙ୍କ ଦ୍ୱାରା ସମସ୍ତ ସୃଷ୍ଟ, ଅନେକ ସନ୍ତାନଙ୍କୁ ଗୌରବରେ ପ୍ରବେଶ କରାଇବାରେ ସେମାନଙ୍କ ପରିତ୍ରାଣର କର୍ତ୍ତା ଯୀଶୁଙ୍କ ଦୁଃଖଭୋଗ ଦ୍ୱାରା ସିଦ୍ଧ କରିବା ଈଶ୍ବରଙ୍କର ଉପଯୁକ୍ତ ଥିଲା। 11ଯେଣୁ ଯେ ପବିତ୍ର କରନ୍ତି ଓ ଯେଉଁମାନେ ପବିତ୍ରୀକୃତ ହୁଅନ୍ତି, ସେମାନେ ସମସ୍ତେ ଏକ ପିତାଙ୍କର ସନ୍ତାନ; ସେଥିନିମନ୍ତେ ସେ ସେମାନଙ୍କୁ ଭ୍ରାତା ବୋଲି କହିବାକୁ ଲଜ୍ଜିତ ନୁହଁନ୍ତି,

ସୁସମାଚାର

ମାର୍କ 10:2–16

2ଇତିମଧ୍ୟରେ ଫାରୂଶୀମାନେ ତାହାଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ଆପଣା ସ୍ତ୍ରୀକୁ ପରିତ୍ୟାଗ କରିବା କଅଣ ପୁରୁଷ ପକ୍ଷରେ ନ୍ୟାୟସଙ୍ଗତ? 3ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ମୋଶା ତୁମ୍ଭମାନଙ୍କୁ କି ଆଜ୍ଞା ଦେଇଅଛନ୍ତି?” 4ସେମାନେ କହିଲେ, ତ୍ୟାଗପତ୍ର ଲେଖି ସ୍ତ୍ରୀକୁ ପରିତ୍ୟାଗ କରିବା ନିମନ୍ତେ ମୋଶା ଅନୁମତି ଦେଇଅଛନ୍ତି। 5ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ସେ ତୁମ୍ଭମାନଙ୍କ ନିମନ୍ତେ ଏହି ଆଜ୍ଞା ଲେଖିଅଛନ୍ତି। 6କିନ୍ତୁ ସୃଷ୍ଟିର ଆରମ୍ଭରୁ ଈଶ୍ବର ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ। 7ଏହି କାରଣରୁ ପୁରୁଷ ଆପଣା ପିତାମାତାଙ୍କଠାରୁ ଅଲଗା ହେବ, ଆଉ ସେମାନେ ଦୁହେଁ ଏକାଙ୍ଗ ହେବେ। 8ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି। 9ଅତଏବ, ଈଶ୍ବର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ଭିନ୍ନ ନ କରୁ।” 10ପରେ ଶିଷ୍ୟମାନେ ଘରେ ଯୀଶୁଙ୍କୁ ଏ ବିଷୟ ପୁନର୍ବାର ପଚାରିବାକୁ ଲାଗିଲେ। 11ସେଥିରେ ସେ ସେମାନଙ୍କୁ କହିଲେ, “ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ତାହା ବିରୁଦ୍ଧରେ ବ୍ୟଭିଚାର କରେ; 12ଆଉ, ଯଦି ସ୍ତ୍ରୀ ଆପଣା ସ୍ୱାମୀକୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ତେବେ ସେ ବ୍ୟଭିଚାର କରେ।” 13ଯୀଶୁ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ଶିଶୁମାନଙ୍କୁ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ସେମାନଙ୍କୁ ଧମକ ଦେଲେ। 14ଯୀଶୁ ତାହା ଦେଖି ବିରକ୍ତ ହୋଇ ସେମାନଙ୍କୁ କହିଲେ, “ଶିଶୁମାନଙ୍କୁ ମୋʼ ନିକଟକୁ ଆସିବାକୁ ଦିଅ, ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ବରଙ୍କ ରାଜ୍ୟ ଏହି ପ୍ରକାର ଲୋକମାନଙ୍କର। 15ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ବରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ।” 16ପୁଣି, ଯୀଶୁ ଶିଶୁମାନଙ୍କୁ କୋଳରେ ଘେନି ଓ ସେମାନଙ୍କ ଉପରେ ହାତ ଥୋଇ ସେମାନଙ୍କୁ ଆଶୀର୍ବାଦ କଲେ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର