ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 6
ଅର୍ଥୋଡକ୍ସ ପଞ୍ଜିକା · 23 ସେପ୍ଟେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 6 ଅକ୍ଟୋବର 2027
ବୁଧବାର · ପେଣ୍ଟିକଷ୍ଟ ପରେ 16ତମ ସପ୍ତାହ · ସ୍ୱର 6
ପର୍ବ ଓ ସନ୍ଥ
Conception by St Elizabeth of the Honorable Glorious Prophet, Forerunner and Baptizer of the Lord John
ଉପବାସ ଦିନ
ଉପବାସ: ତେଲ ସହିତ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
2ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବ୍ୟବସ୍ଥା ସଫଳ କରିବ। 3ଯଦି କୌଣସି ଲୋକ ଅସାର ହେଲେ ହେଁ ଆପଣାକୁ ବଡ଼ ବୋଲି ମନେ କରେ, ତେବେ ସେ ନିଜକୁ ପ୍ରବଞ୍ଚନା କରେ। 4କିନ୍ତୁ ପ୍ରତ୍ୟେକ ଜଣ ଆପଣା କର୍ମ ପରୀକ୍ଷା କରୁ, ତେବେ ସେ ଅନ୍ୟ ସହିତ ଆପଣାକୁ ତୁଳନା କରିବା ଦ୍ୱାରା ଦର୍ପ ନ କରି କେବଳ ନିଜଠାରେ ଦର୍ପର କାରଣ ପାଇବ; 5କାରଣ ପ୍ରତ୍ୟେକ ଜଣ ଆପଣା ଭାର ବହନ କରିବ। 6କିନ୍ତୁ ଯେ ଈଶ୍ବରଙ୍କ ବାକ୍ୟରେ ଶିକ୍ଷା ପ୍ରାପ୍ତ ହୁଏ, ସେ ଶିକ୍ଷାଦାତାଙ୍କୁ ସମସ୍ତ ଉତ୍ତମ ବିଷୟର ସହଭାଗୀ କରାଉ। 7ଭ୍ରାନ୍ତ ନ ହୁଅ; ଈଶ୍ବର ବିଦୃପର ପାତ୍ର ନୁହଁନ୍ତି; କାରଣ ମନୁଷ୍ୟ ଯାହା ବୁଣେ, ତାହା ହିଁ କାଟିବ। 8ଯେଣୁ ଯେ ଆପଣା ଶରୀର ଉଦ୍ଦେଶ୍ୟରେ ବୁଣେ, ସେ ଶରୀରରୁ ଉତ୍ପନ୍ନ କ୍ଷୟଣୀୟ ଶସ୍ୟ କାଟିବ; କିନ୍ତୁ ଯେ ପବିତ୍ର ଆତ୍ମାଙ୍କ ଉଦ୍ଦେଶ୍ୟରେ ବୁଣେ, ସେ ଆତ୍ମାଙ୍କଠାରୁ ଉତ୍ପନ୍ନ ଅନନ୍ତ ଜୀବନରୂପ ଶସ୍ୟ କାଟିବ। 9ଆମ୍ଭେମାନେ ଉତ୍ତମ କର୍ମ କରିବାରେ କ୍ଳାନ୍ତ ନ ହେଉ; କାରଣ କ୍ଳାନ୍ତ ନୋହିଲେ ଉପଯୁକ୍ତ ସମୟରେ ଶସ୍ୟ କାଟିବା। 10ଅତଏବ, ଆମ୍ଭେମାନେ ସୁଯୋଗ ଅନୁସାରେ ସମସ୍ତଙ୍କର, ବିଶେଷତଃ, ଏକ ପରିବାରଭୁକ୍ତ ବିଶ୍ୱାସୀ ସମସ୍ତଙ୍କର ମଙ୍ଗଳ କରୁ।
ପତ୍ର (ଅଗ୍ରଦୂତଙ୍କ ପାଇଁ)
22କାରଣ ପବିତ୍ର ଶାସ୍ତ୍ରରେ ଲେଖାଅଛି, ଅବ୍ରହାମଙ୍କର ଦୁଇଟି ପୁତ୍ର ଥିଲେ, ଜଣେ ଦାସୀଠାରୁ ଓ ଆଉ ଜଣେ ସ୍ୱାଧୀନା ସ୍ତ୍ରୀଠାରୁ ଜାତ। 23ଯେ ଦାସୀର ପୁତ୍ର, ସେ ଶାରୀରିକ ସ୍ୱଭାବାନୁସାରେ ଜାତ ହେଲା; ମାତ୍ର ଯେ ସ୍ୱାଧୀନା ସ୍ତ୍ରୀର ପୁତ୍ର, ସେ ପ୍ରତିଜ୍ଞା ବଳରେ ଜାତ ହେଲା। 24ଏହି ସମସ୍ତ କଥାର ରୂପକ ଅର୍ଥ ଅଛି, କାରଣ ଏହି ସ୍ତ୍ରୀମାନେ ଦୁଇଟି ନିୟମସ୍ୱରୂପ; ଗୋଟିଏ ନିୟମ ସୀନୟ ପର୍ବତରୁ ଉତ୍ପନ୍ନ, ତାହା ଦାସତ୍ୱ ନିମନ୍ତେ ସନ୍ତାନ ପ୍ରସବକାରିଣୀ, ହାଗାର ସେଥିର ନିଦର୍ଶନ। 25ହାଗାର, ଏହି ଶବ୍ଦ ଆରବ ଦେଶରେ ସୀନୟ ପର୍ବତକୁ ବୁଝାଏ, ପୁଣି, ତାହା ବର୍ତ୍ତମାନ ଯିରୂଶାଲମ ସହରର ସମତୁଲ୍ୟ, କାରଣ ଏ ଆପଣା ସନ୍ତାନମାନଙ୍କ ସହିତ ଦାସତ୍ୱରେ ରହିଅଛି। 26କିନ୍ତୁ ଊର୍ଦ୍ଧ୍ୱସ୍ଥ ଯିରୂଶାଲମ ସ୍ୱାଧୀନା, ସେ ଆମ୍ଭମାନଙ୍କ ଜନନୀ; 27ଯେଣୁ ଲେଖାଅଛି, “ଆଗୋ ବନ୍ଧ୍ୟେ, ଅପ୍ରସୂତେ, ଆନନ୍ଦ କର, ଆଗୋ ପ୍ରସବବେଦନା ରହିତେ, ଉଚ୍ଚସ୍ୱରରେ ଜୟଧ୍ୱନି କର; କାରଣ ସଧବାର ସନ୍ତାନଠାରୁ ଅନାଥର ସନ୍ତାନ ଅଧିକ।” 28ହେ ଭାଇମାନେ, ତୁମ୍ଭେମାନେ ଇସ୍ହାକଙ୍କ ପରି ପ୍ରତିଜ୍ଞାର ସନ୍ତାନ। 29କିନ୍ତୁ ଶାରୀରିକ ସ୍ୱଭାବାନୁସାରେ ଯେ ଜାତ, ସେ ଯେପରି ସେ ସମୟରେ ଆତ୍ମାଙ୍କ ପ୍ରତିଜ୍ଞା ଅନୁସାରେ ଯେ ଜାତ, ତାହାଙ୍କୁ ତାଡ଼ନା କରୁଥିଲା, ସେହିପରି ଏବେ ମଧ୍ୟ ଘଟୁଅଛି। 30ମାତ୍ର ଶାସ୍ତ୍ର କଅଣ କୁହେ? ଦାସୀ ଓ ତାହାର ପୁତ୍ରକୁ ବାହାର କରିଦିଅ; କାରଣ ଦାସୀର ପୁତ୍ର ସ୍ୱାଧୀନା ସ୍ତ୍ରୀର ପୁତ୍ର ସହିତ ଉତ୍ତରାଧିକାରୀ ହେବ ନାହିଁ। 31ଅତଏବ, ଭାଇମାନେ, ଆମ୍ଭେମାନେ ଦାସୀର ସନ୍ତାନ ନୋହୁଁ, କିନ୍ତୁ ସ୍ୱାଧୀନା ସ୍ତ୍ରୀର ସନ୍ତାନ।
ସୁସମାଚାର
1ଯୀଶୁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ଯର୍ଦ୍ଦନ ନଦୀରୁ ଫେରି ଆସିଲେ ଏବଂ ଚାଳିଶ ଦିନ ପର୍ଯ୍ୟନ୍ତ ଆତ୍ମାଙ୍କ ଦ୍ୱାରା ପ୍ରାନ୍ତରରେ ଚାଳିତ ହୋଇ ଶୟତାନ ଦ୍ୱାରା ପରୀକ୍ଷିତ ହେଉଥିଲେ। 2ସେହି ସମସ୍ତ ଦିନ ସେ କିଛି ଖାଇଲେ ନାହିଁ, ଆଉ ସେହିସବୁ ଦିନ ଶେଷ ହୁଅନ୍ତେ, ସେ କ୍ଷୁଧିତ ହେଲେ। 3ସେଥିରେ ଶୟତାନ ତାହାଙ୍କୁ କହିଲା, ତୁମ୍ଭେ ଯେବେ ଈଶ୍ବରଙ୍କ ପୁତ୍ର, ତେବେ ଏହି ପଥରକୁ ରୁଟି ହେବା ପାଇଁ ଆଜ୍ଞା ଦିଅ। 4ଯୀଶୁ ତାହାକୁ ଉତ୍ତର ଦେଲେ, “ପବିତ୍ର ଶାସ୍ତ୍ରରେ ଲେଖାଅଛି, ‘ମନୁଷ୍ୟ କେବଳ ରୁଟିରେ ବଞ୍ଚିବ ନାହିଁ।’” 5ଆଉ ସେ ତାହାଙ୍କୁ ଉପରକୁ ନେଇଯାଇ ଏକ ମୁହୂର୍ତ୍ତ ମଧ୍ୟରେ ପୃଥିବୀର ସମସ୍ତ ରାଜ୍ୟ ତାହାଙ୍କୁ ଦେଖାଇଲା। 6ପୁଣି, ଶୟତାନ ତାହାଙ୍କୁ କହିଲା, ଆମ୍ଭେ ତୁମ୍ଭକୁ ଏସମସ୍ତ ଅଧିକାର ଓ ଏସବୁର ଐଶ୍ୱର୍ଯ୍ୟ ଦେବା, କାରଣ ଆମ୍ଭକୁ ତାହା ସମର୍ପିତ ହୋଇଅଛି, ଆଉ ଆମ୍ଭେ ଯାହାକୁ ଇଚ୍ଛା, ତାହାକୁ ତାହା ଦେଉ। 7ଅତଏବ, ତୁମ୍ଭେ ଯେବେ ଆମ୍ଭ ଛାମୁରେ ପ୍ରଣାମ କରିବ, ତେବେ ସମସ୍ତ ତୁମ୍ଭର ହେବ। 8ଯୀଶୁ ତାହାକୁ ଉତ୍ତର ଦେଲେ, “ପବିତ୍ର ଶାସ୍ତ୍ରରେ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣ ଈଶ୍ବରଙ୍କୁ ପ୍ରଣାମ କରିବ, ଆଉ କେବଳ ତାହାଙ୍କର ଉପାସନା କରିବ।’” 9ପୁଣି, ସେ ତାହାଙ୍କୁ ଯିରୂଶାଲମ ସହରକୁ ନେଇଯାଇ ମନ୍ଦିରର ଛାତ ଉପରେ ଠିଆ କରାଇ ତାହାଙ୍କୁ କହିଲା, ତୁମ୍ଭେ ଯଦି ଈଶ୍ବରଙ୍କ ପୁତ୍ର, ତେବେ ଏଠାରୁ ତଳକୁ ଡେଇଁପଡ଼; 10କାରଣ ଶାସ୍ତ୍ରରେ ଲେଖାଅଛି, “‘ତୁମ୍ଭକୁ ରକ୍ଷା କରିବା ନିମନ୍ତେ ସେ ଆପଣା ଦୂତମାନଙ୍କୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ; 11ଆଉ ଲେଖାଅଛି, କାଳେ ତୁମ୍ଭ ପାଦ ପଥରରେ ବାଜିବ, ଏଥିପାଇଁ ସେମାନେ ତୁମ୍ଭକୁ ହସ୍ତରେ ତୋଳି ଧରିବେ।’” 12ପୁଣି, ଯୀଶୁ ତାହାକୁ ଉତ୍ତର ଦେଲେ, “ଶାସ୍ତ୍ରରେ ଏହା ମଧ୍ୟ ଲେଖାଅଛି, ‘ତୁମ୍ଭେ ପ୍ରଭୁ ଆପଣା ଈଶ୍ବରଙ୍କୁ ପରୀକ୍ଷା କର ନାହିଁ।’” 13ଶୟତାନ ଯୀଶୁଙ୍କୁ ସମସ୍ତ ପ୍ରକାର ପରୀକ୍ଷା ଶେଷ କଲା ପରେ କିଛି କାଳ ପର୍ଯ୍ୟନ୍ତ ତାହାଙ୍କୁ ଛାଡ଼ି ଚାଲିଗଲା। 14ଏହାପରେ ଯୀଶୁ ପବିତ୍ର ଆତ୍ମାଙ୍କ ଶକ୍ତିରେ ଗାଲିଲୀକୁ ଫେରିଗଲେ, ଆଉ ଚାରିଆଡ଼େ ସମସ୍ତ ଅଞ୍ଚଳରେ ତାହାଙ୍କ ଖ୍ୟାତି ବ୍ୟାପିଗଲା। 15ପୁଣି, ସେ ସେମାନଙ୍କର ସମାଜଗୃହ ସମୂହରେ ଶିକ୍ଷା ଦେଇ ସମସ୍ତଙ୍କଠାରୁ ଗୌରବ ପାଇବାକୁ ଲାଗିଲେ।
ସୁସମାଚାର (ଅଗ୍ରଦୂତଙ୍କ ପାଇଁ)
5ଯିହୂଦିୟା ପ୍ରଦେଶର ରାଜା ହେରୋଦଙ୍କ ସମୟରେ ଅବିୟଙ୍କ ଦଳର ଜିଖରୀୟ ନାମରେ ଜଣେ ଯାଜକ ଥିଲେ; ତାହାଙ୍କ ଭାର୍ଯ୍ୟା ହାରୋଣ ବଂଶର କନ୍ୟା, ତାହାଙ୍କର ନାମ ଏଲୀଶାବେଥ। 6ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ନିୟମ ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଈଶ୍ବରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ। 7କିନ୍ତୁ ସେମାନଙ୍କର ସନ୍ତାନ ନ ଥିଲା, କାରଣ ଏଲୀଶାବେଥ ବନ୍ଧ୍ୟା ଥିଲେ, ପୁଣି, ଉଭୟଙ୍କ ବୟସ ଅଧିକ ହୋଇଯାଇଥିଲା। 8ସେ ଆପଣା ଦଳର ପାଳି ଅନୁସାରେ ଈଶ୍ବରଙ୍କ ନିକଟରେ ଯାଜକ କାର୍ଯ୍ୟ କରୁଥିବା ସମୟରେ, 9ଯାଜକୀୟ କାର୍ଯ୍ୟର ରୀତି ଅନୁଯାୟୀ ଗୁଲିବାଣ୍ଟ ଦ୍ୱାରା ତାହାଙ୍କୁ ପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କରି ଧୂପ ଦେବାକୁ ପଡ଼ିଲା, 10ଆଉ ଧୂପ ଦେବା ସମୟରେ ସମସ୍ତ ଜନତା ବାହାରେ ପ୍ରାର୍ଥନା କରୁଥିଲେ। 11ସେତେବେଳେ ପ୍ରଭୁଙ୍କର ଜଣେ ଦୂତ ଧୂପବେଦିର ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇ ତାହାଙ୍କୁ ଦର୍ଶନ ଦେଲେ। 12ଜିଖରୀୟ ତାହାଙ୍କୁ ଦେଖି ବିଚଳିତ ଓ ଭୟଗ୍ରସ୍ତ ହେଲେ। 13କିନ୍ତୁ ଦୂତ ତାହାଙ୍କୁ କହିଲେ, ଜିଖରୀୟ, ଭୟ କର ନାହିଁ, କାରଣ ତୁମ୍ଭର ନିବେଦନ ଶୁଣାଯାଇଅଛି, ଆଉ ତୁମ୍ଭର ଭାର୍ଯ୍ୟା ଏଲୀଶାବେଥ ତୁମ୍ଭ ନିମନ୍ତେ ଗୋଟିଏ ପୁତ୍ର ପ୍ରସବ କରିବେ, ପୁଣି, ତୁମ୍ଭେ ତାହାର ନାମ ଯୋହନ ଦେବ। 14ସେ ତୁମ୍ଭର ଆନନ୍ଦ ଓ ଉଲ୍ଲାସର କାରଣ ହେବ, ପୁଣି, ଅନେକେ ତାହାର ଜନ୍ମରେ ଆନନ୍ଦ କରିବେ। 15ଯେଣୁ ସେ ପ୍ରଭୁଙ୍କ ଛାମୁରେ ମହାନ ହେବ; ସେ ଦ୍ରାକ୍ଷାରସ କି ମଦ୍ୟ କେବେ ହେଁ ପାନ କରିବ ନାହିଁ, ପୁଣି, ମାତାର ଉଦରରୁ ହିଁ ପବିତ୍ର ଆତ୍ମାରେ ପୂର୍ଣ୍ଣ ହେବ, 16ଆଉ ସେ, ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରୁ ଅନେକଙ୍କୁ ପ୍ରଭୁ ସେମାନଙ୍କ ଈଶ୍ବରଙ୍କ ପ୍ରତି ଫେରାଇବ। 17ପିତାମାନଙ୍କ ହୃଦୟ ସନ୍ତାନମାନଙ୍କ ପ୍ରତି ଓ ଅବାଧ୍ୟମାନଙ୍କୁ ଧାର୍ମିକମାନଙ୍କ ଜ୍ଞାନରେ ଆଚରଣ କରିବା ନିମନ୍ତେ ଫେରାଇବାକୁ ଏବଂ ପ୍ରଭୁଙ୍କ ସକାଶେ ସୁସଜ୍ଜିତ ଗୋଟିଏ ପ୍ରଜାମଣ୍ଡଳୀ ପ୍ରସ୍ତୁତ କରିବାକୁ ସେ ଏଲୀୟଙ୍କ ଆତ୍ମା ଓ ଶକ୍ତିରେ ପ୍ରଭୁଙ୍କ ଆଗରେ ଗମନ କରିବ। 18ଏଥିରେ ଜିଖରୀୟ ଦୂତଙ୍କୁ କହିଲେ, ମୁଁ କେଉଁ ଚିହ୍ନ ଦ୍ୱାରା ଏହା ଜାଣିବି? କାରଣ ମୁଁ ତ ବୃଦ୍ଧ, ପୁଣି, ମୋହର ଭାର୍ଯ୍ୟାଙ୍କ ବୟସ ଅଧିକ ହେଲାଣି। 19ଦୂତ ତାହାଙ୍କୁ ଉତ୍ତର ଦେଲେ, ମୁଁ ଗାବ୍ରିଏଲ, ମୁଁ ଈଶ୍ବରଙ୍କ ଉପସ୍ଥିତିରେ ଠିଆ ହୁଏ, ଆଉ ତୁମ୍ଭକୁ କହିବାକୁ ଓ ଏହି ସୁସମାଚାର ଜଣାଇବାକୁ ମୁଁ ପଠାଯାଇଅଛି। 20ଦେଖ, ଏହି ସମସ୍ତ ନ ଘଟିବା ଦିନ ପର୍ଯ୍ୟନ୍ତ ତୁମ୍ଭେ ନୀରବ ରହି କଥା କହି ପାରିବ ନାହିଁ, କାରଣ ମୋହର ଯେଉଁ ସବୁ ବାକ୍ୟ ଯଥା ସମୟରେ ସଫଳ ହେବ, ସେହିସବୁ ତୁମ୍ଭେ ବିଶ୍ୱାସ କଲ ନାହିଁ। 21ଇତିମଧ୍ୟରେ ଲୋକମାନେ ଜିଖରୀୟଙ୍କ ଅପେକ୍ଷାରେ ଥିଲେ, ଆଉ ମନ୍ଦିରରେ ତାଙ୍କର ବିଳମ୍ବ ଘଟିବାରେ ସେମାନେ ଆଶ୍ଚର୍ଯ୍ୟ ହେଉଥିଲେ। 22କିନ୍ତୁ ସେ ବାହାରି ଆସି ସେମାନଙ୍କୁ କଥା କହି ପାରିଲେ ନାହିଁ; ଏଥିରେ ସେ ମନ୍ଦିରରେ ଦର୍ଶନ ପାଇଅଛନ୍ତି ବୋଲି ସେମାନେ ବୁଝିଲେ, ଆଉ ସେ ସେମାନଙ୍କୁ ସଙ୍କେତ କରିବାକୁ ଲାଗିଲେ ଓ ମୂକ ହୋଇ ରହିଲେ। 23ପରେ ତାହାଙ୍କ ସେବାପାଳିର ଦିନସବୁ ଶେଷ ହୁଅନ୍ତେ, ସେ ଆପଣା ଘରକୁ ଗଲେ। 24ଏଥିଉତ୍ତାରେ ତାହାଙ୍କ ଭାର୍ଯ୍ୟା ଏଲୀଶାବେଥ ଗର୍ଭବତୀ ହେଲେ, ଆଉ ସେ ପାଞ୍ଚ ମାସ ଗୋପନରେ ରହି କହିଲେ, 25ଲୋକମାନଙ୍କ ମଧ୍ୟରେ ମୋହର ଅପମାନ ଦୂର କରିବା ନିମନ୍ତେ ପ୍ରଭୁ କୃପାଦୃଷ୍ଟି କରି ମୋʼ ପ୍ରତି ଏପରି କରିଅଛନ୍ତି।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ସେପ୍ଟେମ୍ବର 23 ନାଗରିକ ପଞ୍ଜିକାର ଅକ୍ଟୋବର 6। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର