ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 10
ଅର୍ଥୋଡକ୍ସ ପଞ୍ଜିକା · 27 ସେପ୍ଟେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 10 ଅକ୍ଟୋବର 2027
ରବିବାର · ସ୍ୱର 7
ପର୍ବ ଓ ସନ୍ଥ
ପେଣ୍ଟିକଷ୍ଟ ପରେ 16ତମ ରବିବାର
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପ୍ରଭାତୀ ପ୍ରାର୍ଥନାର ପଞ୍ଚମ ସୁସମାଚାର
12[କିନ୍ତୁ ପିତର ଉଠି ସମାଧି ନିକଟକୁ ଦୌଡ଼ିଗଲେ ପୁଣି, ନଇଁପଡ଼ି ଚାହିଁ କେବଳ ସୂକ୍ଷ୍ମ ବସ୍ତ୍ରସବୁ ଦେଖିଲେ, ଆଉ ସେ ସେହି ଘଟଣା ବିଷୟରେ ଚମତ୍କୃତ ହୋଇ ଆପଣା ଘରକୁ ଚାଲିଗଲେ।] 13ଆଉ ଦେଖ, ସେହି ଦିନ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଯିରୂଶାଲମଠାରୁ ପ୍ରାୟ ସାତ ମାଇଲ୍ ଦୂରବର୍ତ୍ତୀ ଇମ୍ମାୟୁ ଗ୍ରାମକୁ ଯାଉଥିଲେ 14ଓ ଏହି ସମସ୍ତ ଘଟଣା ବିଷୟରେ ପରସ୍ପର କଥାବାର୍ତ୍ତା କରୁଥିଲେ। 15ସେମାନେ କଥାବାର୍ତ୍ତା ଓ ବାଦାନୁବାଦ କରୁଥିବା ସମୟରେ ଯୀଶୁ ଆପେ ସେମାନଙ୍କ ନିକଟକୁ ଆସି ସେମାନଙ୍କ ସଙ୍ଗେ ସଙ୍ଗେ ଗମନ କରିବାକୁ ଲାଗିଲେ; 16କିନ୍ତୁ ସେମାନଙ୍କର ଚକ୍ଷୁ ଏପରି ରୁଦ୍ଧ ହୋଇଥିଲା ଯେ, ସେମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ। 17ସେ ସେମାନଙ୍କୁ ପଚାରିଲେ, “ତୁମ୍ଭେମାନେ ଚାଲୁ ଚାଲୁ ଯେଉଁ ସମସ୍ତ ବିଷୟ ପରସ୍ପର କଥାବାର୍ତ୍ତା କରୁଅଛ, ସେ ସବୁ କଅଣ?” ସେଥିରେ ସେମାନେ ବିଷଣ୍ଣ ମୁଖରେ ଠିଆ ହୋଇ ରହିଲେ। 18ଆଉ ସେମାନଙ୍କ ମଧ୍ୟରୁ କ୍ଲେୟପା ନାମକ ଜଣେ ତାହାଙ୍କୁ ଉତ୍ତର ଦେଲେ, ଯିରୂଶାଲମସ୍ଥ ପ୍ରବାସୀମାନଙ୍କ ମଧ୍ୟରୁ ଆପଣ କଅଣ ଏକାକୀ ସେ ସ୍ଥାନର ଏ କେତେକ ଦିନର ଘଟଣା ଜାଣନ୍ତି ନାହିଁ? 19ସେ ସେମାନଙ୍କୁ ପଚାରିଲେ, “କି କି ପ୍ରକାର ଘଟଣା?” ସେମାନେ ତାହାଙ୍କୁ କହିଲେ, ନାଜରିତୀୟ ଯୀଶୁଙ୍କ ବିଷୟ; ସେ ଈଶ୍ବର ଓ ସମସ୍ତ ଲୋକଙ୍କ ଦୃଷ୍ଟିରେ କର୍ମରେ ଓ ବାକ୍ୟରେ ଜଣେ ଶକ୍ତିଶାଳୀ ଭାବବାଦୀ ଥିଲେ, 20ଆଉ, ଆମ୍ଭମାନଙ୍କର ପ୍ରଧାନ ଯାଜକ ଓ ଅଧ୍ୟକ୍ଷମାନେ କିପରି ତାହାଙ୍କୁ ପ୍ରାଣଦଣ୍ଡ ଭୋଗିବାକୁ ସମର୍ପଣ କରି ତାହାଙ୍କୁ କ୍ରୁଶରେ ବଧ କଲେ, ଏହି ସମସ୍ତ ବିଷୟ। 21କିନ୍ତୁ ଯେ ଇସ୍ରାଏଲକୁ ମୁକ୍ତ କରିବେ, ସେ ଯେ ଏହି ବ୍ୟକ୍ତି, ତାହା ଆମ୍ଭେମାନେ ଆଶା କରିଥିଲୁ; ମାତ୍ର ଏହା ଛଡ଼ା ଏସମସ୍ତ ଘଟିବାର ଆଜିକି ତିନି ଦିନ ହେଲା। 22ଆହୁରି ମଧ୍ୟ ଆମ୍ଭମାନଙ୍କ ମଧ୍ୟରୁ କେତେକ ସ୍ତ୍ରୀଲୋକ ଆମ୍ଭମାନଙ୍କୁ ଆଚମ୍ଭିତ କରିଅଛନ୍ତି; ସେମାନେ ପ୍ରତ୍ୟୁଷରେ ସମାଧି ନିକଟକୁ ଯାଇଥିଲେ 23ଆଉ, ତାହାଙ୍କ ଶରୀର ନ ପାଇ ଆସି କହିଲେ ଯେ, ସେମାନେ ଦୂତମାନଙ୍କର ଦର୍ଶନ ମଧ୍ୟ ପାଇଅଛନ୍ତି ଓ ସେହି ଦୂତମାନେ କହିଲେ ଯେ, ସେ ଜୀବିତ ଅଛନ୍ତି। 24ଆଉ, ଆମ୍ଭମାନଙ୍କ ସଙ୍ଗୀମାନଙ୍କ ମଧ୍ୟରୁ କେହି କେହି ସମାଧି ନିକଟକୁ ଯାଇ, ସ୍ତ୍ରୀଲୋକମାନେ ଯେପରି କହିଥିଲେ, ସେପରି ଦେଖିଲେ, କିନ୍ତୁ ଯୀଶୁଙ୍କୁ ଦେଖିଲେ ନାହିଁ। 25ସେଥିରେ ସେ ସେମାନଙ୍କୁ କହିଲେ, “ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ୱାରା କଥିତ ସମସ୍ତ ବାକ୍ୟରେ ବିଶ୍ୱାସ କରିବାକୁ ଶିଥିଳଚିତ୍ତମାନେ, 26ଏହି ସମସ୍ତ ଦୁଃଖଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କଅଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା?” 27ପୁଣି, ମୋଶା ଓ ସମସ୍ତ ଭାବବାଦୀଙ୍କଠାରୁ ଆରମ୍ଭ କରି ସମସ୍ତ ଧର୍ମଶାସ୍ତ୍ରରେ ଆପଣା ସମ୍ବନ୍ଧୀୟ କଥା ସେ ସେମାନଙ୍କୁ ବୁଝାଇଦେଲେ। 28ଆଉ ସେମାନେ ଯେଉଁ ଗ୍ରାମକୁ ଯାଉଥିଲେ, ସେଥିର ନିକଟବର୍ତ୍ତୀ ହୁଅନ୍ତେ ସେ ଆହୁରି ଆଗକୁ ଯିବାର ଭାବ ଦେଖାଇଲେ। 29କିନ୍ତୁ ସେମାନେ ତାହାଙ୍କୁ ବଳାଇ କହିଲେ, ଆମ୍ଭମାନଙ୍କ ସାଙ୍ଗରେ ରହନ୍ତୁ, କାରଣ ସନ୍ଧ୍ୟା ହୋଇ ଆସୁଅଛି ଓ ବେଳ ଗଡ଼ିଗଲାଣି। ସେଥିରେ ସେ ସେମାନଙ୍କ ସହିତ ରହିବାକୁ ଘର ଭିତରକୁ ଗଲେ। 30ଆଉ ସେମାନଙ୍କ ସହିତ ଭୋଜନରେ ବସିଲା ଉତ୍ତାରେ ସେ ରୁଟି ଘେନି ଆଶୀର୍ବାଦ କଲେ, ପୁଣି, ତାହା ଭାଙ୍ଗି ସେମାନଙ୍କୁ ଦେବାକୁ ଲାଗିଲେ। 31ତହିଁରେ ସେମାନଙ୍କ ଚକ୍ଷୁ ଉନ୍ମୁକ୍ତ ହେଲା ଓ ସେମାନେ ତାହାଙ୍କୁ ଚିହ୍ନିଲେ; ଆଉ ସେ ସେମାନଙ୍କ ଦୃଷ୍ଟିରୁ ଅନ୍ତର୍ହିତ ହେଲେ। 32ସେଥିରେ ସେମାନେ ପରସ୍ପର କହିଲେ, ଯେତେବେଳେ ପଥ ମଧ୍ୟରେ ସେ ଆମ୍ଭମାନଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିଲେ ଓ ଆମ୍ଭମାନଙ୍କୁ ଧର୍ମଶାସ୍ତ୍ର ବୁଝାଉଥିଲେ, ସେତେବେଳେ କଅଣ ଆମ୍ଭମାନଙ୍କ ହୃଦୟ ଉତ୍ତପ୍ତ ହେଉ ନ ଥିଲା? 33ଆଉ ସେମାନେ ସେହି ଦଣ୍ଡରେ ଉଠି ଯିରୂଶାଲମ ସହରକୁ ବାହୁଡ଼ିଯାଇ ସମବେତ ହୋଇଥିବା ଏକାଦଶ ଶିଷ୍ୟମାନଙ୍କୁ ଓ ସେମାନଙ୍କ ସଙ୍ଗୀମାନଙ୍କୁ ଦେଖିଲେ; 34ସେମାନେ କହୁଥିଲେ ପ୍ରଭୁ ନିଶ୍ଚୟ ଉଠିଅଛନ୍ତି ଓ ଶିମୋନଙ୍କୁ ଦର୍ଶନ ଦେଇଅଛନ୍ତି। 35ଆଉ ସେମାନେ ମଧ୍ୟ ବାଟର ସମସ୍ତ ଘଟଣା ଓ ରୁଟି ଭାଙ୍ଗିବାରେ ସେ କିପରି ସେମାନଙ୍କ ଦ୍ୱାରା ଚିହ୍ନାଗଲେ, ସେହିସବୁ ବର୍ଣ୍ଣନା କରିବାକୁ ଲାଗିଲେ।
ପତ୍ର
1ଆହୁରି ମଧ୍ୟ ଈଶ୍ବରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ। 2କାରଣ ସେ କହନ୍ତି, “ଆମ୍ଭେ ଅନୁଗ୍ରହର ସମୟରେ ତୁମ୍ଭର ପ୍ରାର୍ଥନା ଶ୍ରବଣ କଲୁ, ଆଉ ପରିତ୍ରାଣର ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କଲୁ।” ଦେଖ, ଏବେ ମହା-ଅନୁଗ୍ରହର ସମୟ; ଦେଖ, ଏବେ ପରିତ୍ରାଣର ଦିନ। 3ଯେପରି ଆମ୍ଭମାନଙ୍କ ସେବକପଦ ନିନ୍ଦିତ ନ ହୁଏ, ସେଥିପାଇଁ ଆମ୍ଭେମାନେ କୌଣସି ବିଷୟରେ ବାଧା ନ ଦେଉ, 4ବରଂ ବହୁ ଧୈର୍ଯ୍ୟରେ, କ୍ଳେଶରେ, ଦୁର୍ଦ୍ଦଶାରେ, ସଙ୍କଟରେ, 5ପ୍ରହାରରେ, କାରାବାସରେ, ବିପ୍ଳବରେ, ପରିଶ୍ରମରେ, ଜାଗରଣରେ, ଉପବାସରେ, 6ପବିତ୍ରତାରେ, ଜ୍ଞାନରେ, ଦୀର୍ଘସହିଷ୍ଣୁତାରେ, କୋମଳଭାବରେ, ପବିତ୍ର ଆତ୍ମାଙ୍କଠାରେ, ନିଷ୍କପଟ ପ୍ରେମରେ, 7ସତ୍ୟ ବାକ୍ୟରେ, ଈଶ୍ବରଙ୍କ ଶକ୍ତିରେ, ଦକ୍ଷିଣ ଓ ବାମହସ୍ତରେ ଧାର୍ମିକତାର ଅସ୍ତ୍ରଶସ୍ତ୍ର ଦ୍ୱାରା, 8ଗୌରବ ଓ ଅନାଦର ଦ୍ୱାରା, ଅଖ୍ୟାତି ଓ ସୁଖ୍ୟାତି ଦ୍ୱାରା, ପ୍ରତାରକ ତୁଲ୍ୟ, ଅଥବା ସତ୍ୟବାଦୀ, 9ଅପରିଚିତ ତୁଲ୍ୟ, ଅଥବା ସୁପରିଚିତ, ମୃତକଳ୍ପ ତୁଲ୍ୟ, ଅଥବା ଦେଖ, ଆମ୍ଭେମାନେ ଜୀବିତ, ଶାସ୍ତିପ୍ରାପ୍ତ ତୁଲ୍ୟ, 10ଅଥବା ନିହତ ନୋହୁଁ, ଦୁଃଖିତ ତୁଲ୍ୟ, କିନ୍ତୁ ସର୍ବଦା ଆନନ୍ଦିତ, ଦୀନହୀନର ତୁଲ୍ୟ, କିନ୍ତୁ ଅନେକଙ୍କ ପ୍ରତି ଧନଦାୟକ, ଅକିଞ୍ଚନ ତୁଲ୍ୟ, ଅଥବା ସର୍ବାଧିକାରୀ; ଏହି ସମସ୍ତରେ ଆମ୍ଭେମାନେ ଈଶ୍ବରଙ୍କ ସେବକ ସଦୃଶ ଆପଣା ଆପଣାକୁ ଯୋଗ୍ୟ ବୋଲି ପ୍ରକାଶ କରୁଅଛୁ।
ସୁସମାଚାର
1ଦିନେ ଯେତେବେଳେ ଲୋକସମୂହ ଯୀଶୁଙ୍କ ଉପରେ ମାଡ଼ିପଡ଼ି ଈଶ୍ବରଙ୍କ ବାକ୍ୟ ଶୁଣୁଥିଲେ, ସେତେବେଳେ ସେ ଗିନ୍ନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ; 2ଆଉ ସେ ହ୍ରଦ କୂଳରେ ଦୁଇଟି ନୌକା ଥିବାର ଦେଖିଲେ; ମାଛୁଆମାନେ ସେଥିରୁ ଓହ୍ଲାଇ ଜାଲ ଧୋଉଥିଲେ। 3ସେହି ନୌକାଗୁଡ଼ିକ ମଧ୍ୟରୁ ଯାହା ଶିମୋନଙ୍କର ଥିଲା, ସେଥିରେ ସେ ଚଢ଼ି ସ୍ଥଳରୁ ଅଳ୍ପ ଦୂରକୁ ଯିବା ନିମନ୍ତେ ତାହାଙ୍କୁ ଅନୁରୋଧ କଲେ; ଆଉ, ସେ ବସି ନୌକାରୁ ଲୋକସମୂହକୁ ଶିକ୍ଷା ଦେବାକୁ ଲାଗିଲେ। 4ସେ କଥା ଶେଷ କରି ଶିମୋନଙ୍କୁ କହିଲେ, “ଗଭୀର ଜଳକୁ ଯାଇ ମାଛ ଧରିବା ନିମନ୍ତେ ତୁମ୍ଭମାନଙ୍କର ଜାଲ ପକାଅ।” 5ଏଥିରେ ଶିମୋନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ରାତିଯାକ ପରିଶ୍ରମ କରି କିଛି ଧରି ନାହୁଁ; କିନ୍ତୁ ଆପଣଙ୍କ କଥାରେ ମୁଁ ଜାଲ ପକାଇବି। 6ଆଉ, ସେମାନେ ତାହା ପକାଇ ବହୁତ ମାଛ ଧରିଲେ, ପୁଣି, ସେମାନଙ୍କ ଜାଲ ଛିଣ୍ଡିବାକୁ ଲାଗିଲା। 7ସେଥିରେ ସେମାନଙ୍କର ଯେଉଁ ସହକର୍ମୀମାନେ ଅନ୍ୟ ନୌକାରେ ଥିଲେ, ସେମାନେ ଯେପରି ଆସି ସାହାଯ୍ୟ କରନ୍ତି, ଏଥିପାଇଁ ସେମାନେ ସେମାନଙ୍କୁ ଠାରିଲେ। ଏଥିରେ ସେମାନେ ଆସି ଦୁଇଟି ନୌକାକୁ ଏପରି ପୂର୍ଣ୍ଣ କଲେ ଯେ, ସେଗୁଡ଼ିକ ବୁଡ଼ିବାକୁ ଲାଗିଲା। 8କିନ୍ତୁ ଶିମୋନ ପିତର ଏହା ଦେଖି ଯୀଶୁଙ୍କ ଚରଣ ତଳେ ପଡ଼ି କହିଲେ, ହେ ପ୍ରଭୁ, ମୋ ନିକଟରୁ ଚାଲିଯାଅ, ଯେଣୁ ମୁଁ ଜଣେ ପାପୀ ମନୁଷ୍ୟ। 9କାରଣ ସେମାନେ ଏତେ ମାଛ ଧରିଥିଲେ ଯେ, ତାହା ଦେଖି ସେ ଓ ତାହାଙ୍କ ସଙ୍ଗୀ ସମସ୍ତେ ଆଶ୍ଚର୍ଯ୍ୟ ହେଲେ; 10ପୁଣି, ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ, ଯେଉଁମାନେ ଶିମୋନଙ୍କର ସହଭାଗୀ ଥିଲେ, ସେମାନେ ମଧ୍ୟ ସେହି ପ୍ରକାର ଆଶ୍ଚର୍ଯ୍ୟାନ୍ୱିତ ହେଲେ। ପୁଣି, ଯୀଶୁ ଶିମୋନଙ୍କୁ କହିଲେ, “ଭୟ କର ନାହିଁ, ଆଜିଠାରୁ ତୁମ୍ଭେ ମନୁଷ୍ୟମାନଙ୍କୁ ଧରିବ।” 11ସେଥିରେ ସେମାନେ ନୌକାଗୁଡ଼ିକ କୂଳକୁ ଆଣି ସବୁ ଛାଡ଼ିଦେଇ ତାହାଙ୍କର ଅନୁଗମନ କଲେ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ସେପ୍ଟେମ୍ବର 27 ନାଗରିକ ପଞ୍ଜିକାର ଅକ୍ଟୋବର 10। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର