ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 11
ଅର୍ଥୋଡକ୍ସ ପଞ୍ଜିକା · 28 ସେପ୍ଟେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 11 ଅକ୍ଟୋବର 2027
ସୋମବାର · ପେଣ୍ଟିକଷ୍ଟ ପରେ 17ତମ ସପ୍ତାହ · ସ୍ୱର 7
ପର୍ବ ଓ ସନ୍ଥ
Venerable Chariton the Confessor, Abbot of Palestine († c. 350)
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ସନ୍ଧ୍ୟା ପ୍ରାର୍ଥନା: ପାଠ
ଏହି ଅନୁବାଦରେ ନାହିଁ
ସନ୍ଧ୍ୟା ପ୍ରାର୍ଥନା: ପାଠ
ଏହି ଅନୁବାଦରେ ନାହିଁ
ସନ୍ଧ୍ୟା ପ୍ରାର୍ଥନା: ପାଠ
ଏହି ଅନୁବାଦରେ ନାହିଁ
ପ୍ରଭାତୀ ପ୍ରାର୍ଥନା: ସୁସମାଚାର
25ପୁଣି, ଗାଲିଲୀ, ଦେକାପଲି, ଯିରୂଶାଲମ, ଯିହୂଦିୟା ପ୍ରଦେଶ ଓ ଯର୍ଦ୍ଦନ ନଦୀର ଅପର ପାରିରୁ ବହୁସଂଖ୍ୟକ ଲୋକ ଆସି ତାହାଙ୍କ ପଶ୍ଚାତ୍ଗମନ କଲେ। 5:1ଲୋକମାନଙ୍କୁ ଦେଖି ଯୀଶୁ ପାହାଡ ଉପରକୁ ଚଢ଼ିଲେ, ପୁଣି, ବସିବା ପରେ ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସିଲେ। 2ସେଥିରେ ସେ ମୁଖ ଫିଟାଇ ସେମାନଙ୍କୁ ଶିକ୍ଷା ଦେଇ କହିବାକୁ ଲାଗିଲେ, 3“ଆତ୍ମାରେ ଦୀନହୀନ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର। 4ଶୋକାର୍ତ୍ତ ଲୋକେ ଧନ୍ୟ, କାରଣ ସେମାନେ ସାନ୍ତ୍ୱନାପ୍ରାପ୍ତ ହେବେ। 5ନମ୍ର ଲୋକେ ଧନ୍ୟ, କାରଣ ସେମାନେ ପୃଥିବୀର ଅଧିକାରୀ ହେବେ। 6ଧାର୍ମିକତା ନିମନ୍ତେ କ୍ଷୁଧିତ ଓ ତୃଷିତ ଲୋକେ ଧନ୍ୟ, କାରଣ ସେମାନେ ପରିତୃପ୍ତ ହେବେ। 7ଦୟାଳୁ ଲୋକେ ଧନ୍ୟ, କାରଣ ସେମାନେ ଦୟା ପ୍ରାପ୍ତ ହେବେ। 8ଶୁଦ୍ଧଚିତ୍ତ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ବରଙ୍କ ଦର୍ଶନ ପାଇବେ। 9ଶାନ୍ତିକାରକ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ବରଙ୍କ ସନ୍ତାନ ଭାବରେ ପରିଚିତ ହେବେ। 10ଧାର୍ମିକତା ନିମନ୍ତେ ତାଡ଼ନାପ୍ରାପ୍ତ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର। 11ଲୋକେ ଯେବେ ତୁମ୍ଭମାନଙ୍କୁ ମୋʼ ସକାଶେ ନିନ୍ଦା ଓ ତାଡ଼ନା କରନ୍ତି, ପୁଣି, ମିଥ୍ୟାରେ ତୁମ୍ଭମାନଙ୍କ ବିରୁଦ୍ଧରେ ସମସ୍ତ ପ୍ରକାର ମନ୍ଦ କଥା କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ। 12ଆନନ୍ଦ କର ଓ ଉଲ୍ଲସିତ ହୁଅ, କାରଣ ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ସେହିପରି ତ ସେମାନେ ତୁମ୍ଭମାନଙ୍କ ପୂର୍ବରୁ ଆସିଥିବା ଭାବବାଦୀମାନଙ୍କୁ ତାଡ଼ନା କରିଥିଲେ।
ପତ୍ର
22ଆଉ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କରି ରଖି ତାହାଙ୍କୁ ସର୍ବ ବିଷୟର ମସ୍ତକରୂପେ ମଣ୍ଡଳୀକୁ ଦାନ କଲେ; 23ସେହି ମଣ୍ଡଳୀ ଖ୍ରୀଷ୍ଟଙ୍କ ଶରୀର ସ୍ୱରୂପ, ଅର୍ଥାତ୍ ଯେ ସମସ୍ତ ବିଷୟକୁ ସର୍ବତୋଭାବେ ପୂର୍ଣ୍ଣ କରନ୍ତି, ତାହାଙ୍କ ପୂର୍ଣ୍ଣତା। 2:1ଏହି ସଂସାରର ଭାବାନୁସାରେ ପୁଣି, ଆକାଶମଣ୍ଡଳ ରାଜ୍ୟର ଅଧିପତି, 2ଅର୍ଥାତ୍ ଯେଉଁ ଜଗତ୍ପତି ଏବେ ମଧ୍ୟ ଅନାଜ୍ଞାବହ ସନ୍ତାନମାନଙ୍କଠାରେ କାର୍ଯ୍ୟ ସାଧନ କରୁଅଛି, ତାହାର ଇଚ୍ଛାନୁସାରେ ତୁମ୍ଭେମାନେ ମଧ୍ୟ ପୂର୍ବରେ ଆଚରଣ କରି ଅପରାଧ ଓ ପାପରେ ମୃତ ଥିଲ; 3ସେହି ଅନାଜ୍ଞାବହ ସନ୍ତାନମାନଙ୍କ ସହିତ ଆମ୍ଭେମାନେ ସମସ୍ତେ ମଧ୍ୟ ଏକ ସମୟରେ ଆମ୍ଭମାନଙ୍କ ଶାରୀରିକ ଅଭିଳାଷ ଅନୁସାରେ ଜୀବନଯାପନ କରି ଶାରୀରିକ ଓ ମନର କାମନା ପୂର୍ଣ୍ଣ କରୁଥିଲୁ, ପୁଣି, ଅନ୍ୟମାନଙ୍କ ପରି ସୁଦ୍ଧା ସ୍ୱଭାବତଃ କ୍ରୋଧର ପାତ୍ର ଥିଲୁ;
ପତ୍ର (ସନ୍ଥ ଖାରିଟୋନ୍ଙ୍କ ପାଇଁ)
6ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ବର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଈଶ୍ବରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି। 7ମାତ୍ର ମହାଶକ୍ତି ଯେ ଈଶ୍ବରଙ୍କର, ପୁଣି, ତାହା ଯେ ଆମ୍ଭମାନଙ୍କଠାରୁ ଉତ୍ପନ୍ନ ନୁହେଁ, ଏହା ଯେପରି ପ୍ରକାଶ ପାଏ, ଏଥିନିମନ୍ତେ ଆମ୍ଭେମାନେ ଏହି ଧନ ମୃତ୍ତିକା ପାତ୍ରରେ ପାଇଅଛୁ; 8ଆମ୍ଭେମାନେ ସର୍ବପ୍ରକାରେ କ୍ଳେଶଭୋଗ କରୁଅଛୁ, ତଥାପି ଅବରୁଦ୍ଧ ନୋହୁଁ; ହତବୁଦ୍ଧି ହେଉଅଛୁ, ତଥାପି ନିରାଶ ନୋହୁଁ; 9ତାଡ଼ନା ପ୍ରାପ୍ତ ହେଉଅଛୁ, ତଥାପି ପରିତ୍ୟକ୍ତ ନୋହୁଁ; ଅଧଃପତିତ ହେଉଅଛୁ, ତଥାପି ବିନଷ୍ଟ ନୋହୁଁ; 10ଆମ୍ଭେମାନେ ସର୍ବଦା ଯୀଶୁଙ୍କ ମୃତ୍ୟୁଭୋଗ ଶରୀରରେ ଅନୁଭବ କରୁଅଛୁ, ଯେପରି ଯୀଶୁଙ୍କ ଜୀବନ ମଧ୍ୟ ଆମ୍ଭମାନଙ୍କ ଶରୀରରେ ପ୍ରକାଶିତ ହୁଏ। 11କାରଣ ଯୀଶୁଙ୍କ ଜୀବନ ଯେପରି ଆମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ପ୍ରକାଶିତ ହୁଏ, ଏଥିପାଇଁ ଆମ୍ଭେମାନେ ଜୀବିତ ହେଲେ ହେଁ ସର୍ବଦା ଯୀଶୁଙ୍କ ସକାଶେ ମୃତ୍ୟୁମୁଖରେ ସମର୍ପିତ ହେଉଅଛୁ। 12ଏହି ପ୍ରକାରେ ଆମ୍ଭମାନଙ୍କଠାରେ ମୃତ୍ୟୁ, କିନ୍ତୁ ତୁମ୍ଭମାନଙ୍କଠାରେ ଜୀବନ କାର୍ଯ୍ୟ ସାଧନ କରୁଅଛି। 13“ମୁଁ ବିଶ୍ୱାସ କଲି, ଏଣୁ କଥା କହିଲି,” ଶାସ୍ତ୍ରରେ ଏହି ଲିଖିତ ବାକ୍ୟ ଅନୁସାରେ ସେହି ବିଶ୍ୱାସଜନକ ଆତ୍ମା ପାଇଥିବାରୁ ଆମ୍ଭେମାନେ ମଧ୍ୟ ବିଶ୍ୱାସ କରୁ, ଏଣୁ ମଧ୍ୟ କଥା କହୁ; 14କାରଣ ଆମ୍ଭେମାନେ ଜାଣୁ, ପ୍ରଭୁ ଯୀଶୁଙ୍କୁ ଯେ ଉଠାଇଲେ, ସେ ଆମ୍ଭମାନଙ୍କୁ ମଧ୍ୟ ଯୀଶୁଙ୍କ ସହିତ ଉଠାଇବେ ଓ ତାହାଙ୍କ ଛାମୁରେ ତୁମ୍ଭମାନଙ୍କ ସହିତ ଉପସ୍ଥିତ କରିବେ। 15ଯେଣୁ ସମସ୍ତ ବିଷୟ ତୁମ୍ଭମାନଙ୍କ ସକାଶେ ହେଉଅଛି, ସେହିପରି ଅନେକ ଲୋକଙ୍କଠାରେ ଅନୁଗ୍ରହ ଅତ୍ୟଧିକ ବୃଦ୍ଧି ପାଇ ଈଶ୍ବରଙ୍କ ଗୌରବାର୍ଥେ ବହୁଳ ଧନ୍ୟବାଦର କାରଣ ହେଉ।
ସୁସମାଚାର
37ସେଥିରେ ତାହାଙ୍କ ବିଷୟରେ ସମାଚାର ଚତୁର୍ଦ୍ଦିଗସ୍ଥ ଅଞ୍ଚଳର ସବୁଆଡ଼େ ବ୍ୟାପିଗଲା। 38ପରେ ସେ ସମାଜଗୃହରୁ ଉଠି ଶିମୋନଙ୍କ ଘରକୁ ଗଲେ। ଶିମୋନଙ୍କ ଶାଶୁଙ୍କୁ ଭୟଙ୍କର ଜ୍ୱର ହୋଇଥିଲା, ଆଉ ସେମାନେ ତାହାଙ୍କ ବିଷୟରେ ତାହାଙ୍କୁ ଅନୁରୋଧ କଲେ। 39ସେଥିରେ ସେ ତାହାଙ୍କ ପାଖରେ ଠିଆ ହୋଇ ଜ୍ୱରକୁ ଧମକ ଦେଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ସେହିକ୍ଷଣି ଉଠି ସେମାନଙ୍କ ସେବା କରିବାକୁ ଲାଗିଲେ। 40ସୂର୍ଯ୍ୟ ଅସ୍ତ ହେବା ସମୟରେ, ଯେଉଁମାନଙ୍କ ନିକଟରେ ନାନା ପ୍ରକାର ରୋଗରେ ପୀଡ଼ିତ ଲୋକମାନେ ଥିଲେ, ସେ ସମସ୍ତେ ସେମାନଙ୍କୁ ତାହାଙ୍କ ନିକଟକୁ ଆଣିଲେ ଏବଂ ସେ ପ୍ରତ୍ୟେକ ଜଣ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କଲେ। 41ପୁଣି, ଭୂତମାନେ ମଧ୍ୟ ଚିତ୍କାର କରୁ କରୁ ତୁମ୍ଭେ ଈଶ୍ବରଙ୍କ ପୁତ୍ର ବୋଲି କହି ଅନେକଙ୍କଠାରୁ ବାହାରିଗଲେ। ଆଉ, ଯୀଶୁ ସେମାନଙ୍କୁ ଧମକ ଦେଇ କଥା କହିବାକୁ ଦେଲେ ନାହିଁ, କାରଣ ସେ ଯେ ଖ୍ରୀଷ୍ଟ, ଏହା ସେମାନେ ଜାଣିଥିଲେ। 42ସକାଳ ହେବାରୁ, ସେ ବାହାରି ଏକ ନିର୍ଜନ ସ୍ଥାନକୁ ଗଲେ; ଆଉ, ଲୋକସମୂହ ତାହାଙ୍କୁ ଖୋଜି ଖୋଜି ତାହାଙ୍କ ନିକଟକୁ ଆସିଲେ, ପୁଣି, ସେ ଯେପରି ସେମାନଙ୍କ ପାଖରୁ ଚାଲି ନ ଯାଆନ୍ତି, ସେଥିନିମନ୍ତେ ତାହାଙ୍କୁ ଅଟକାଇବା ପାଇଁ ଚେଷ୍ଟା କଲେ। 43କିନ୍ତୁ ସେ ସେମାନଙ୍କୁ କହିଲେ, “ଅନ୍ୟାନ୍ୟ ନଗରରେ ମଧ୍ୟ ମୋତେ ଅବଶ୍ୟ ଈଶ୍ବରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରିବାକୁ ହେବ, କାରଣ ସେଥିନିମନ୍ତେ ମୁଁ ପଠାଯାଇଅଛି।” 44ପୁଣି, ସେ ଯିହୂଦିୟା ପ୍ରଦେଶର ସମାଜଗୃହମାନଙ୍କରେ ପ୍ରଚାର କରିବାକୁ ଲାଗିଲେ।
ସୁସମାଚାର (ସନ୍ଥ ଖାରିଟୋନ୍ଙ୍କ ପାଇଁ)
17ଆଉ ସେ ସେମାନଙ୍କ ସହିତ ଓହ୍ଲାଇ ଗୋଟିଏ ସମତଳ ଭୂମିରେ ଠିଆ ହେଲେ, ପୁଣି, ତାହାଙ୍କର ଅନେକ ଶିଷ୍ୟ ଏବଂ ସମସ୍ତ ଯିହୂଦିୟା ପ୍ରଦେଶ, ଯିରୂଶାଲମ ଆଉ ସୋର ଓ ସୀଦୋନର ଉପକୂଳରୁ ଅନେକେ ଉପସ୍ଥିତ ହେଲେ; 18ସେମାନେ ତାହାଙ୍କ ବାକ୍ୟ ଶୁଣିବାକୁ ଓ ଆପଣା ଆପଣା ରୋଗରୁ ସୁସ୍ଥ ହେବାକୁ ଆସିଥିଲେ, ଆଉ ଯେଉଁମାନେ ଅଶୁଚି ଆତ୍ମାଗୁଡ଼ାକ ଦ୍ୱାରା କଷ୍ଟ ପାଉଥିଲେ, ସେମାନେ ସୁସ୍ଥ କରାଗଲେ; 19ପୁଣି, ଲୋକସମୂହ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ, କାରଣ ତାହାଙ୍କଠାରୁ ଶକ୍ତି ବାହାରି ସମସ୍ତଙ୍କୁ ସୁସ୍ଥ କରୁଥିଲା। 20ସେ ସମୟରେ ସେ ଆପଣା ଶିଷ୍ୟମାନଙ୍କୁ ଦେଖି କହିଲେ, “ଦୀନହୀନ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କର। 21ବର୍ତ୍ତମାନ କ୍ଷୁଧିତ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ପରିତୃପ୍ତ ହେବ। ବର୍ତ୍ତମାନ ରୋଦନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ହାସ୍ୟ କରିବ। 22ଲୋକେ ଯେବେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ମନୁଷ୍ୟପୁତ୍ରଙ୍କ ହେତୁ ଅଲଗା କରନ୍ତି ପୁଣି, ନିନ୍ଦା କରନ୍ତି ଓ ତୁମ୍ଭମାନଙ୍କ ନାମକୁ ମନ୍ଦ ବୋଲି ଅଗ୍ରାହ୍ୟ କରନ୍ତି, ତେବେ ତୁମ୍ଭେମାନେ ଧନ୍ୟ। 23ସେହି ଦିନ ଆନନ୍ଦରେ ନୃତ୍ୟ କର, କାରଣ ଦେଖ, ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ଆଉ ସେହିପରି ତ ସେମାନଙ୍କ ପିତୃ-ପୁରୁଷମାନେ ଭାବବାଦୀମାନଙ୍କ ପ୍ରତି କରୁଥିଲେ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ସେପ୍ଟେମ୍ବର 28 ନାଗରିକ ପଞ୍ଜିକାର ଅକ୍ଟୋବର 11। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର