ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 16
ଅର୍ଥୋଡକ୍ସ ପଞ୍ଜିକା · 3 ଅକ୍ଟୋବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 16 ଅକ୍ଟୋବର 2027
ଶନିବାର · ପେଣ୍ଟିକଷ୍ଟ ପରେ 17ତମ ସପ୍ତାହ · ସ୍ୱର 7
ପର୍ବ ଓ ସନ୍ଥ
Hieromartyr Dionysius the Areopagite, Bishop of Athens († 96)
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
20ହେ ଭାଇମାନେ, ବୁଦ୍ଧିରେ ବାଳକ ପରି ହୁଅ ନାହିଁ, ବରଂ ମନ୍ଦ ବିଷୟରେ ଶିଶୁ ପରି ହୁଅ, କିନ୍ତୁ ବୁଦ୍ଧିରେ ପୂର୍ଣ୍ଣ-ବୟସ୍କ ହୁଅ। 21ବ୍ୟବସ୍ଥାରେ ଲେଖାଅଛି, “ପ୍ରଭୁ କହନ୍ତି, ବିଦେଶୀୟ ଭାଷାବାଦୀମାନଙ୍କ ଦ୍ୱାରା ଓ ବିଦେଶୀୟମାନଙ୍କ ମୁଖ ଦ୍ୱାରା ଆମ୍ଭେ ଏହି ଲୋକମାନଙ୍କୁ କଥା କହିବା, ତାହାହେଲେ ସୁଦ୍ଧା ସେମାନେ ଆମ୍ଭର କଥା ଶୁଣିବେ ନାହିଁ।” 22ଏଣୁ ପରଭାଷାରେ କଥା କହିବା ବିଶ୍ୱାସୀମାନଙ୍କ ନିମନ୍ତେ ଚିହ୍ନସ୍ୱରୂପ ନୁହେଁ, ମାତ୍ର ଅବିଶ୍ୱାସୀମାନଙ୍କ ନିମନ୍ତେ ଚିହ୍ନସ୍ୱରୂପ; ଅନ୍ୟ ପକ୍ଷରେ ଭାବବାଣୀ କହିବା ଅବିଶ୍ୱାସୀମାନଙ୍କ ନିମନ୍ତେ ଚିହ୍ନସ୍ୱରୂପ ନୁହେଁ, ମାତ୍ର ବିଶ୍ୱାସୀମାନଙ୍କ ନିମନ୍ତେ ଚିହ୍ନସ୍ୱରୂପ। 23ଆହୁରି ମଧ୍ୟ ସମସ୍ତ ମଣ୍ଡଳୀ ଯଦି ସମବେତ ହୁଏ ଓ ସମସ୍ତେ ପରଭାଷାରେ କଥା କହନ୍ତି, ପୁଣି, ସାଧାରଣ ବା ଅବିଶ୍ୱାସୀ ଲୋକମାନେ ଆସନ୍ତି, ତାହାହେଲେ ତୁମ୍ଭେମାନେ ପାଗଳ ବୋଲି କଅଣ ସେମାନେ କହିବେ ନାହିଁ? 24କିନ୍ତୁ ଯଦି ସମସ୍ତେ ଭାବବାଣୀ କହନ୍ତି, ପୁଣି, ଜଣେ ଅବିଶ୍ୱାସୀ ବା ସାଧାରଣ ଲୋକ ଆସେ, ତେବେ ସେ ସମସ୍ତଙ୍କ ଦ୍ୱାରା ଦୋଷୀ ବୋଲି ପ୍ରମାଣିତ ହୁଏ, ସମସ୍ତଙ୍କ ଦ୍ୱାରା ବିଚାରିତ ହୁଏ, 25ତାହାର ହୃଦୟର ଗୁପ୍ତ ବିଷୟସବୁ ପ୍ରକାଶିତ ହୁଏ; ସେଥିରେ ସେ ମୁହଁ ମାଡ଼ି ପଡ଼ିବ ଓ ଈଶ୍ବର ଯେ ନିଶ୍ଚୟ ତୁମ୍ଭମାନଙ୍କ ମଧ୍ୟରେ ଅଛନ୍ତି, ଏହା ସ୍ୱୀକାର କରି ତାହାଙ୍କୁ ପ୍ରଣାମ କରିବ।
ପତ୍ର (ସନ୍ଥ ଏରିୟପାଗୀୟ ଦିୟନୂସୀୟଙ୍କ ପାଇଁ)
16ଆଥିନୀରେ ପାଉଲ ସେମାନଙ୍କ ଅପେକ୍ଷାରେ ଥିବା ସମୟରେ ସେହି ନଗରକୁ ପ୍ରତିମାରେ ପରିପୂର୍ଣ୍ଣ ଦେଖି ତାହାଙ୍କ ଆତ୍ମା ଉତ୍ତପ୍ତ ହୋଇ ଉଠିଲା। 17ତେଣୁ ସେ ସମାଜଗୃହରେ ଯିହୁଦୀ ଓ ଯିହୁଦୀମତାବଲମ୍ବୀ ଅଣଯିହୁଦୀମାନଙ୍କ ସହିତ, ଆଉ ବଜାର ଛକରେ ପ୍ରତିଦିନ ଯେଉଁମାନଙ୍କ ସାଙ୍ଗରେ ଦେଖା ହେଉଥିଲା, ସେମାନଙ୍କୁ ଉପଦେଶ ଦେଉଥିଲେ। 18ସେଥିରେ ଏପିକୂରୀୟ ଓ ସ୍ତୋୟିକ ଦର୍ଶନଶାସ୍ତ୍ରର କେତେକ ଦାର୍ଶନିକ ମଧ୍ୟ ତାହାଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ, ପୁଣି, କେହି କେହି କହିଲେ, ଏ ବାଚାଳଟା କଅଣ କହିବାକୁ ଇଚ୍ଛା କରୁଅଛି? ଆଉ କେହି କେହି କହିଲେ, ସେ ଅଜଣା ଦେବତାମାନଙ୍କର ପ୍ରଚାରକ ହେଲା ପରି ଜଣାଯାଉଅଛି; କାରଣ ସେ ଯୀଶୁ ଓ ପୁନରୁତ୍ଥାନ ବିଷୟକ ସୁସମାଚାର ପ୍ରଚାର କରୁଥିଲେ। 19ପରେ ସେମାନେ ତାହାଙ୍କୁ ଆରିୟପାଗକୁ ଘେନିଯାଇ କହିଲେ, ଏହି ଯେ ନୂତନ ଶିକ୍ଷା ଆପଣ ଦେଉଅଛନ୍ତି, ତାହା କଅଣ ବୋଲି ଆମ୍ଭେମାନେ ଜାଣି ପାରିବା କି? 20କାରଣ ଆପଣ କେତେକ ଅଦ୍ଭୁତ ବିଷୟ ଆମ୍ଭମାନଙ୍କ କର୍ଣ୍ଣଗୋଚର କରୁଅଛନ୍ତି; ଅତଏବ ଏହି ସମସ୍ତ କଥାର ଅର୍ଥ କଅଣ, ଆମ୍ଭେମାନେ ତାହା ଜାଣିବାକୁ ଇଚ୍ଛା କରୁ। 21ଆଥିନୀ ସହରର ଲୋକ ସମସ୍ତେ ଓ ସେଠାରେ ପ୍ରବାସୀ ବିଦେଶୀୟମାନେ କେବଳ କୌଣସି ନୂତନ କଥା କହିବା ଓ ଶୁଣିବା ଛଡ଼ା ଆଉ କାହିଁରେ କାଳକ୍ଷେପଣ କରୁ ନ ଥିଲେ। 22ଏଥିରେ ପାଉଲ ଆରିୟପାଗର ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, ହେ ଆଥିନୀ ସହରର ଲୋକମାନେ, ଆପଣମାନେ ଯେ ସମସ୍ତ ବିଷୟରେ ବଡ଼ ଦେବ ଭକ୍ତ, ଏହା ମୁଁ ଦେଖୁଅଛି। 23କାରଣ ମୁଁ ଭ୍ରମଣ କରିବା ସମୟରେ ଆପଣମାନଙ୍କର ପୂଜିତ ବସ୍ତୁସମସ୍ତ ଦେଖୁ ଦେଖୁ ଗୋଟିଏ ବେଦି ମଧ୍ୟ ଦେଖିଲି, ଯାହା ଉପରେ ଏହି କଥା ଲେଖା ହୋଇଅଛି, “ଅଜ୍ଞାତ ଦେବତାଙ୍କ ଉଦ୍ଦେଶ୍ୟରେ।” ଅତଏବ, ଆପଣମାନେ ନ ଜାଣି ଯାହାଙ୍କର ପୂଜା କରୁଅଛନ୍ତି, ମୁଁ ତାହାଙ୍କୁ ଆପଣମାନଙ୍କ ନିକଟରେ ପ୍ରଚାର କରୁଅଛି। 24ଯେଉଁ ଈଶ୍ବର ଜଗତ ଓ ତନ୍ମଧ୍ୟସ୍ଥ ସମସ୍ତ ପଦାର୍ଥ ସୃଷ୍ଟି କରିଅଛନ୍ତି, ସେ ସ୍ୱର୍ଗ ଓ ପୃଥିବୀର ପ୍ରଭୁ ହେବାରୁ ହସ୍ତନିର୍ମିତ ମନ୍ଦିର-ସମୂହରେ ବାସ କରନ୍ତି ନାହିଁ, 25କିଅବା ତାହାଙ୍କର କୌଣସି ଅଭାବ ଥିବାରୁ ମନୁଷ୍ୟହସ୍ତ ଦ୍ୱାରା ସେବିତ ହୁଅନ୍ତି ନାହିଁ, ଯେଣୁ ସେ ସ୍ୱୟଂ ସମସ୍ତଙ୍କୁ ଜୀବନ, ନିଶ୍ୱାସ, ଓ ସମସ୍ତ ପଦାର୍ଥ ଦାନ କରନ୍ତି। 26ଆଉ, ସେ ପୃଥିବୀର ସର୍ବତ୍ର ବାସ କରିବା ନିମନ୍ତେ ଏକ ବ୍ୟକ୍ତିଠାରୁ ସମସ୍ତ ମାନବଜାତି ସୃଷ୍ଟି କରିଅଛନ୍ତି; ସେ ସେମାନଙ୍କର ନିର୍ଦ୍ଦିଷ୍ଟ କାଳ ଓ ନିବାସର ସୀମା ସ୍ଥିର କରିଅଛନ୍ତି, 27ସେମାନେ ଯେପରି ଈଶ୍ବରଙ୍କର ଅନ୍ୱେଷଣ କରି କାଳେ ଦରାଣ୍ଡି ଦରାଣ୍ଡି ତାହାଙ୍କର ଉଦ୍ଦେଶ୍ୟ ପାଇ ପାରନ୍ତି, ଯଦ୍ୟପି ସେ ଆମ୍ଭମାନଙ୍କର କାହାରିଠାରୁ ଦୂରରେ ନାହାନ୍ତି। 28କାରଣ ତାହାଙ୍କଠାରେ ଆମ୍ଭମାନଙ୍କର ଅସ୍ତି, ଗତି ଓ ସ୍ଥିତି, ଯେପରି ଆପଣମାନଙ୍କର ନିଜ କବିମାନଙ୍କ ମଧ୍ୟରୁ ସୁଦ୍ଧା କେତେକ କହିଅଛନ୍ତି, “କାରଣ ଆମ୍ଭେମାନେ ମଧ୍ୟ ତାହାଙ୍କ ବଂଶ।” 29ତେବେ, ଆମ୍ଭେମାନେ ଈଶ୍ବରଙ୍କର ବଂଶ ହେବାରୁ ଈଶ୍ବରଙ୍କ ସ୍ୱରୂପକୁ ମନୁଷ୍ୟର ଶିଳ୍ପ ଓ କଳ୍ପନା ଅନୁସାରେ ଖୋଦିତ ସ୍ୱର୍ଣ୍ଣ କି ରୌପ୍ୟ କି ପ୍ରସ୍ତର ତୁଲ୍ୟ ବୁଝିବା ଆମ୍ଭମାନଙ୍କର ଉଚିତ୍ ନୁହେଁ। 30ଈଶ୍ବର ସେହି ଅଜ୍ଞାନତାର କାଳ ଉପେକ୍ଷା କରିଅଛନ୍ତି ସତ୍ୟ, କିନ୍ତୁ ଏବେ ସେ ସର୍ବତ୍ର ସମସ୍ତ ମନୁଷ୍ୟଙ୍କୁ ମନ-ପରିବର୍ତ୍ତନ କରିବା ନିମନ୍ତେ ଜଣାନ୍ତି; 31କାରଣ ଯେଉଁ ଦିନ ସେ ଆପଣା ନିରୂପିତ ବ୍ୟକ୍ତିଙ୍କ ଦ୍ୱାରା ଧାର୍ମିକତାରେ ଜଗତର ବିଚାର କରିବେ, ଏହିପରି ଗୋଟିଏ ଦିନ ସ୍ଥିର କରିଅଛନ୍ତି, ଆଉ ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କରି ଏହି ବିଷୟରେ ସମସ୍ତଙ୍କ ନିକଟରେ ପ୍ରମାଣ ଦେଇଅଛନ୍ତି। 32ମୃତମାନଙ୍କର ପୁନରୁତ୍ଥାନ କଥା ଶୁଣି କେହି କେହି ପରିହାସ କରିବାକୁ ଲାଗିଲେ; ଆଉ କେହି କେହି କହିଲେ, ଆମ୍ଭେମାନେ ଆଉ ଥରେ ଆପଣଙ୍କଠାରୁ ଏହି ବିଷୟ ଶୁଣିବା। 33ଏହି ପ୍ରକାରେ ପାଉଲ ସେମାନଙ୍କ ମଧ୍ୟରୁ ବାହାରିଗଲେ। 34କିନ୍ତୁ କୌଣସି କୌଣସି ଲୋକ ତାହାଙ୍କ ସପକ୍ଷ ହୋଇ ବିଶ୍ୱାସ କଲେ; ସେମାନଙ୍କ ମଧ୍ୟରେ ଏରିୟପାଗୀୟ ଦିୟନୂସୀୟ, ଦାମାରି ନାମ୍ନୀ ଜଣେ ମହିଳା ସେମାନଙ୍କ ସହିତ ଆଉ କେତେକ ଲୋକ ଥିଲେ।
ସୁସମାଚାର
17ଦିନେ ସେ ଶିକ୍ଷା ଦେଉଥିଲେ, ଆଉ ଗାଲିଲୀର ପ୍ରତ୍ୟେକ ଗ୍ରାମ, ପୁଣି, ଯିହୂଦିୟା ପ୍ରଦେଶ ଓ ଯିରୂଶାଲମ ସହରରୁ ଆସିଥିବା ଫାରୂଶୀ ଓ ମୋଶାଙ୍କ ବ୍ୟବସ୍ଥା ଶିକ୍ଷକମାନେ ନିକଟରେ ବସିଥିଲେ। ଆଉ, ସେ ଯେପରି ସୁସ୍ଥ କରନ୍ତି ଏଥିପାଇଁ ପ୍ରଭୁଙ୍କର ଶକ୍ତି ଉପସ୍ଥିତ ଥିଲା। 18ପୁଣି, ଦେଖ, କେତେକ ଲୋକ ଜଣେ ପକ୍ଷାଘାତରୋଗୀ ମନୁଷ୍ୟକୁ ଖଟିଆରେ ବୋହିଆଣି ତାହାକୁ ଭିତରକୁ ନେଇଯିବା ନିମନ୍ତେ ଓ ତାହାଙ୍କ ସମ୍ମୁଖରେ ଥୋଇବା ନିମନ୍ତେ ଚେଷ୍ଟା କରୁଥିଲେ। 19କିନ୍ତୁ ଭିଡ଼ ହେତୁ ତାହାକୁ ଭିତରକୁ ନେଇଯିବା ପାଇଁ ବାଟ ନ ପାଇବାରୁ ସେମାନେ ଘର ଉପରକୁ ଯାଇ ଛାତ ଭିତର ଦେଇ ଖଟିଆ ସହିତ ତାହାକୁ ମଧ୍ୟସ୍ଥାନରେ ଯୀଶୁଙ୍କ ସମ୍ମୁଖରେ ଓହ୍ଲାଇଦେଲେ। 20ସେ ସେମାନଙ୍କର ବିଶ୍ୱାସ ଦେଖି କହିଲେ, “ହେ ବନ୍ଧୁ, ତୁମ୍ଭର ପାପସବୁ କ୍ଷମା କରାଯାଇଅଛି।” 21ସେଥିରେ ଶାସ୍ତ୍ରୀ ଓ ଫାରୂଶୀମାନେ ତର୍କବିତର୍କ କରି ଏହା କହିବାକୁ ଲାଗିଲେ, ଏ ଯେ ଈଶ୍ବର ନିନ୍ଦା କରୁଅଛି, ଏ କିଏ? କେବଳ ଈଶ୍ବରଙ୍କ ବିନା ଆଉ କିଏ ପାପ କ୍ଷମା କରିପାରେ? 22କିନ୍ତୁ ଯୀଶୁ ତାହାଙ୍କ ତର୍କବିତର୍କ ଜ୍ଞାତ ହୋଇ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଆପଣା ଆପଣା ମନରେ କଅଣ ତର୍କବିତର୍କ କରୁଅଛ? 23କଅଣ ସହଜ? ‘ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା,’ ବା, ‘ଉଠ, ଚାଲ ବୋଲି କହିବା?’ 24କିନ୍ତୁ, ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର,” ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, “ମୁଁ ତୁମ୍ଭକୁ କହୁଅଛି, ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଯାଅ।” 25ସେଥିରେ ସେ ସେହିକ୍ଷଣି ସେମାନଙ୍କ ସାକ୍ଷାତରେ ଉଠି, ଯାହା ଉପରେ ସେ ଶୋଇଥିଲେ, ତାହା ନେଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ ନିଜ ଗୃହକୁ ଚାଲିଗଲେ। 26ତହିଁରେ ସମସ୍ତେ ଆଚମ୍ଭିତ ହୋଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ ଓ ଅତିଶୟ ଭୟ କରି କହିଲେ, ଆଜି ଆମ୍ଭେମାନେ ଆଶ୍ଚର୍ଯ୍ୟ ଘଟଣା ଦେଖିଲୁ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅକ୍ଟୋବର 3 ନାଗରିକ ପଞ୍ଜିକାର ଅକ୍ଟୋବର 16। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର