ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 17
ଅର୍ଥୋଡକ୍ସ ପଞ୍ଜିକା · 4 ଅକ୍ଟୋବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 17 ଅକ୍ଟୋବର 2027
ରବିବାର · ସ୍ୱର 8
ପର୍ବ ଓ ସନ୍ଥ
ପେଣ୍ଟିକଷ୍ଟ ପରେ 17ତମ ରବିବାର
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପ୍ରଭାତୀ ପ୍ରାର୍ଥନାର ଷଷ୍ଠ ସୁସମାଚାର
36କିନ୍ତୁ ସେମାନେ ଏହିସବୁ କଥା କହୁଥିବା ସମୟରେ ସେ ଆପେ ଏମାନଙ୍କ ମଧ୍ୟରେ ଉପସ୍ଥିତ ହେଲେ, ଏବଂ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ପ୍ରତି ଶାନ୍ତି ବର୍ତ୍ତୁ।” 37ମାତ୍ର ସେମାନେ ଆତଙ୍କିତ ଓ ଭୀତ ହୋଇ ଗୋଟିଏ ଭୂତ ଦେଖୁଅଛନ୍ତି ବୋଲି ମନେ କଲେ। 38ସେଥିରେ ସେ ସେମାନଙ୍କୁ କହିଲେ, “କାହିଁକି ଉଦ୍ବିଗ୍ନ ହେଉଅଛ, ପୁଣି, ତୁମ୍ଭମାନଙ୍କ ମନରେ କାହିଁକି ତର୍କବିତର୍କ ଉଠୁଅଛି? 39ଏ ଯେ ସ୍ୱୟଂ ମୁଁ, ମୋହର ହାତ ଓ ପାଦ ଦେଖ, ମୋତେ ସ୍ପର୍ଶ କରି ଦେଖ, କାରଣ ମୋହର ଯେପରି ମାଂସ ଓ ଅସ୍ଥି ଥିବାର ତୁମ୍ଭେମାନେ ଦେଖୁଅଛ, ଭୂତର ସେପରି ନାହିଁ।” 40[ଆଉ ସେ ଏହା କହି ସେମାନଙ୍କୁ ଆପଣା ହାତ ଓ ପାଦ ଦେଖାଇଲେ।] 41ତେବେ ମଧ୍ୟ ସେମାନେ ଆନନ୍ଦ ହେତୁ ଅବିଶ୍ୱାସ କରି ଚମତ୍କୃତ ହେବାରୁ ସେ ସେମାନଙ୍କୁ ପଚାରିଲେ, “ଏଠାରେ ତୁମ୍ଭମାନଙ୍କ ପାଖରେ କଅଣ ଖାଦ୍ୟ ଅଛି?” 42ସେଥିରେ ସେମାନେ ତାହାଙ୍କୁ ଖଣ୍ଡେ ଭଜା ମାଛ ଦେଲେ। 43ଆଉ, ସେ ତାହା ଘେନି ସେମାନଙ୍କ ସାକ୍ଷାତରେ ଭୋଜନ କଲେ। 44ପୁଣି, ସେ ସେମାନଙ୍କୁ କହିଲେ, “ମୋଶାଙ୍କ ବ୍ୟବସ୍ଥାରେ ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତା ଧର୍ମଶାସ୍ତ୍ରରେ ମୋʼ ବିଷୟରେ ଯାହା ଯାହା ଲେଖାଅଛି, ସେହିସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି।” 45ସେତେବେଳେ ସେମାନେ ଯେପରି ଧର୍ମଶାସ୍ତ୍ର ବୁଝି ପାରନ୍ତି, ସେଥିପାଇଁ ସେ ସେମାନଙ୍କର ମନ ଉନ୍ମୁକ୍ତ କଲେ; 46ଆଉ ସେମାନଙ୍କୁ କହିଲେ, “ଏହି ପ୍ରକାରେ ଲେଖାଅଛି, ଖ୍ରୀଷ୍ଟ ଦୁଃଖଭୋଗ କରିବେ ଓ ତୃତୀୟ ଦିନରେ ମୃତମାନଙ୍କ ମଧ୍ୟରୁ ପୁନର୍ବାର ଜୀବିତ ହେବେ, 47ପୁଣି, ଯିରୂଶାଲମ ସହରରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନ-ପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ। 48ତୁମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ ଅଟ 49ଆଉ ଦେଖ, ମୋହର ପିତା ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ମୁଁ ତୁମ୍ଭମାନଙ୍କ ନିକଟକୁ ପଠାଉଅଛି, କିନ୍ତୁ ଊର୍ଦ୍ଧ୍ୱରୁ ଶକ୍ତି ପ୍ରାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହି ନଗରରେ ରହିଥାଅ।” 50ତତ୍ପରେ ସେ ସେମାନଙ୍କୁ ବେଥନୀୟାକୁ ଯିବା ବାଟ ପର୍ଯ୍ୟନ୍ତ ଘେନିଗଲେ ଓ ଆପଣା ହାତ ତୋଳି ସେମାନଙ୍କୁ ଆଶୀର୍ବାଦ କଲେ। 51ପୁଣି, ସେମାନଙ୍କୁ ଆଶୀର୍ବାଦ କରୁ କରୁ ସେ ସେମାନଙ୍କଠାରୁ ଅଲଗା ହୋଇ ସ୍ୱର୍ଗକୁ ନୀତ ହେଲେ। 52ଆଉ ସେମାନେ ତାହାଙ୍କୁ ପ୍ରଣାମ କରି ମହାନନ୍ଦରେ ଯିରୂଶାଲମ ସହରକୁ ବାହୁଡ଼ିଗଲେ, 53ପୁଣି, ସର୍ବଦା ମନ୍ଦିରରେ ରହି ଈଶ୍ବରଙ୍କ ସ୍ତବ କରିବାକୁ ଲାଗିଲେ।
ପତ୍ର
16ପ୍ରତିମା ସହିତ ଈଶ୍ବରଙ୍କ ମନ୍ଦିରର କି ସମ୍ବନ୍ଧ? କାରଣ ଆମ୍ଭେମାନେ ଜୀବିତ ଈଶ୍ବରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ବର କହିଅଛନ୍ତି, “ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ବର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ।” 17ଏଣୁ ପ୍ରଭୁ ଏହା କହନ୍ତି, “ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା” 18“ଆମ୍ଭେ ତୁମ୍ଭମାନଙ୍କର ପିତା ହେବା, ପୁଣି, ତୁମ୍ଭେମାନେ ଆମ୍ଭର ପୁତ୍ରକନ୍ୟା ହେବ, ଏହା ସର୍ବଶକ୍ତିମାନ ପ୍ରଭୁ କହନ୍ତି।” 7:1ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞାପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି, ଈଶ୍ବରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ।
ସୁସମାଚାର
31ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯେପ୍ରକାର ବ୍ୟବହାର କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କର। 32ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭେମାନେ କି ଅନୁଗ୍ରହ ପାଇବ? କାରଣ ପାପୀମାନେ ସୁଦ୍ଧା ଆପଣା ଆପଣା ପ୍ରେମକାରୀମାନଙ୍କୁ ପ୍ରେମ କରନ୍ତି। 33ଆଉ, ଯେଉଁମାନେ ତୁମ୍ଭମାନଙ୍କର ମଙ୍ଗଳ କରନ୍ତି, ଯଦି ତୁମ୍ଭେମାନେ ସେମାନଙ୍କର ମଙ୍ଗଳ କର, ତେବେ ତୁମ୍ଭେମାନେ କି ଅନୁଗ୍ରହ ପାଇବ? କାରଣ ପାପୀମାନେ ସୁଦ୍ଧା ତାହା କରନ୍ତି। 34ପୁଣି, ଯେଉଁମାନଙ୍କଠାରୁ ତୁମ୍ଭମାନଙ୍କର ପାଇବାର ଆଶା ଥାଏ, ସେମାନଙ୍କୁ ଋଣ ଦେଲେ ତୁମ୍ଭେମାନେ କି ଅନୁଗ୍ରହ ପାଇବ? ପାପୀମାନେ ସୁଦ୍ଧା ସମାନ ପରିମାଣରେ ପରିଶୋଧ ପାଇବା ନିମନ୍ତେ ପାପୀମାନଙ୍କୁ ଋଣ ଦିଅନ୍ତି। 35ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର, ପୁଣି, ପରିଶୋଧ ନେବାର ଆଶା ନ ରଖି ଋଣ ଦିଅ; ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ମହାନ ଈଶ୍ବରଙ୍କ ସନ୍ତାନ ହେବ, କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି ଦୟାଳୁ ଅଟନ୍ତି। 36ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ଦୟାଳୁ, ତୁମ୍ଭେମାନେ ସେହିପରି ଦୟାଳୁ ହୁଅ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅକ୍ଟୋବର 4 ନାଗରିକ ପଞ୍ଜିକାର ଅକ୍ଟୋବର 17। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର