Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2027 › ଅକ୍ଟୋବର 31

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 31 ଅକ୍ଟୋବର 2027

ରବିବାର · ସାଧାରଣ କାଳର 31ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 31ତମ ରବିବାର

ରବିବାର · ଉପାସନାର ରଙ୍ଗ: ସବୁଜ

ଦିନର ପାଠ

ପ୍ରଥମ ପାଠ

ଦ୍ବି.ବି 6:2–6

2ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ସକଳ ବିଧି ଓ ଆଜ୍ଞା ମୁଁ ଆଦେଶ କରେ, ତୁମ୍ଭେ ଯାବଜ୍ଜୀବନ ପୁତ୍ରପୌତ୍ରାଦିକ୍ରମେ ତାହା ପାଳନ କରିବା ପାଇଁ ତାଙ୍କୁ ଭୟ କଲେ, ତୁମ୍ଭର ଦୀର୍ଘାୟୁ ହେବ। 3ଏହେତୁ ହେ ଇସ୍ରାଏଲ, ଶୁଣ ଓ ତାହା ପାଳନ କରିବାକୁ ମନୋଯୋଗ କର; ତହିଁରେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷଗଣର ପରମେଶ୍ୱର ତୁମ୍ଭକୁ ଯେରୂପ ପ୍ରତିଜ୍ଞା କରିଅଛନ୍ତି, ତଦନୁସାରେ ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶରେ ତୁମ୍ଭର ମଙ୍ଗଳ ହେବ ଓ ତୁମ୍ଭେମାନେ ଅତିଶୟ ବର୍ଦ୍ଧିଷ୍ଣୁ ହେବ। 4ହେ ଇସ୍ରାଏଲ, ଶୁଣ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଏକମାତ୍ର ସଦାପ୍ରଭୁ ଅଟନ୍ତି। 5ଏନିମନ୍ତେ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ଶକ୍ତି ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ। 6ପୁଣି ଏହି ଯେଉଁ ସକଳ କଥା ମୁଁ ଆଜି ତୁମ୍ଭକୁ ଆଜ୍ଞା କରୁଅଛି, ତାହା ତୁମ୍ଭେ ଆପଣା ହୃଦୟରେ ରଖିବ।

ପ୍ରତିଉତ୍ତର ଗୀତ

ଗୀତ 18:1–3, 46, 50

1ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ। ସଦାପ୍ରଭୁ ଶତ୍ରୁମାନଙ୍କ ହସ୍ତରୁ ଓ ଶାଉଲଙ୍କ ହସ୍ତରୁ ତାଙ୍କୁ ଉଦ୍ଧାର କରିବା ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତର କଥା ନିବେଦନ କରିଥିଲେ; ସେ କହିଲେ, ହେ ମୋହର ବଳ ସ୍ୱରୂପ ସଦାପ୍ରଭୋ, ମୁଁ ତୁମ୍ଭଙ୍କୁ ପ୍ରେମ କରେ। 2ସଦାପ୍ରଭୁ ମୋହର ଶୈଳ, ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ୱର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି; ମୋହର ଢାଲ ଓ ମୋହର ପରିତ୍ରାଣର ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ। 3ମୁଁ ପ୍ରଶଂସନୀୟ ସଦାପ୍ରଭୁଙ୍କୁ ଡାକିବି; ତହିଁରେ ମୁଁ ଆପଣା ଶତ୍ରୁଗଣଠାରୁ ନିସ୍ତାର ପାଇବି। 46ସଦାପ୍ରଭୁ ଜୀବିତ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋହର ପରିତ୍ରାଣ ସ୍ୱରୂପ ପରମେଶ୍ୱର ଉନ୍ନତ ହେଉନ୍ତୁ। 50ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି ଓ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ପ୍ରତି ଓ ତାହାର ବଂଶ ପ୍ରତି ଅନନ୍ତକାଳ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରନ୍ତି।

ଦ୍ୱିତୀୟ ପାଠ

ଏବ୍ରୀ 7:23–28

23ସେହି ଯାଜକମାନେ ତ ବହୁସଂଖ୍ୟାରେ ନିଯୁକ୍ତ ହୋଇଅଛନ୍ତି, କାରଣ ମୃତ୍ୟୁ ସେମାନଙ୍କୁ ଚିରସ୍ଥାୟୀ ହେବାକୁ ଦେଇ ନାହିଁ, 24କିନ୍ତୁ ସେ ନିତ୍ୟସ୍ଥାୟୀ ହେବାରୁ ଅପରିବର୍ତ୍ତନୀୟ ଯାଜକତ୍ୱ ପ୍ରାପ୍ତ କରିଅଛନ୍ତି। 25ଅତଏବ, ତାହାଙ୍କ ଦ୍ୱାରା ଯେଉଁମାନେ ଈଶ୍ବରଙ୍କ ନିକଟବର୍ତ୍ତୀ ହୁଅନ୍ତି, ସେମାନଙ୍କୁ ସେ ସମ୍ପୂର୍ଣ୍ଣ ରୂପେ ପରିତ୍ରାଣ ଦେବାକୁ ସକ୍ଷମ ଅଟନ୍ତି, ଯେଣୁ ସେମାନଙ୍କ ନିମନ୍ତେ ନିବେଦନ କରିବା ପାଇଁ ସେ ନିତ୍ୟ ଜୀବିତ। 26କାରଣ ଏହି ପ୍ରକାର ମହାଯାଜକ ଆମ୍ଭମାନଙ୍କ ପକ୍ଷରେ ଉପଯୁକ୍ତ, ଯେ କି ପବିତ୍ର, ନିର୍ଦ୍ଦୋଷ, ନିଷ୍କଳଙ୍କ, ପାପୀମାନଙ୍କଠାରୁ ପୃଥକୀକୃତ, ପୁଣି, ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ। 27ସେହି ମହାଯାଜକମାନଙ୍କ ସଦୃଶ ପ୍ରତିଦିନ ପ୍ରଥମରେ ଆପଣାର ପାପ ପାଇଁ ଓ ପରେ ଲୋକମାନଙ୍କ ପାପ ପାଇଁ ବଳି ଉତ୍ସର୍ଗ କରିବା ତାହାଙ୍କର ଆବଶ୍ୟକ ନୁହେଁ, କାରଣ ଆପଣାକୁ ଉତ୍ସର୍ଗ କରିବା ଦ୍ୱାରା ସେ ଏକାଥରକେ ଏହା କରିଅଛନ୍ତି। 28ଯେଣୁ ମୋଶାଙ୍କ ବ୍ୟବସ୍ଥା ଦୁର୍ବଳତାବିଶିଷ୍ଟ ମନୁଷ୍ୟକୁ ମହାଯାଜକ ପଦରେ ନିଯୁକ୍ତ କରେ, କିନ୍ତୁ ଯେଉଁ ଶପଥବାକ୍ୟ ମୋଶାଙ୍କ ବ୍ୟବସ୍ଥା ପରେ ହୋଇଥିଲା, ତାହା ଅନନ୍ତକାଳ ପର୍ଯ୍ୟନ୍ତ ସିଦ୍ଧିପ୍ରାପ୍ତ ଈଶ୍ବରଙ୍କ ପୁତ୍ରଙ୍କୁ ନିଯୁକ୍ତ କରେ।

ସୁସମାଚାର

ମାର୍କ 12:28–34

28ସେତେବେଳେ ଶାସ୍ତ୍ରୀମାନଙ୍କ ମଧ୍ୟରୁ ଜଣେ ପାଖକୁ ଆସି ସେମାନଙ୍କର ବାଦାନୁବାଦ ଶୁଣି ଓ ଯୀଶୁ ଯେ ସେମାନଙ୍କୁ ଯଥାର୍ଥ ଉତ୍ତର ଦେଇଅଛନ୍ତି, ଏହା ଜାଣି ତାହାଙ୍କୁ ପଚାରିଲେ, ସମସ୍ତ ଆଜ୍ଞା ମଧ୍ୟରେ କେଉଁ ଆଜ୍ଞା ପ୍ରଧାନ? 29ଯୀଶୁ ଉତ୍ତର ଦେଲେ, “ପ୍ରଧାନ ଆଜ୍ଞା ଏହି, ହେ ଇସ୍ରାଏଲ, ଶୁଣ; ପ୍ରଭୁ ଆମ୍ଭମାନଙ୍କ ଈଶ୍ବର ଏକମାତ୍ର ପ୍ରଭୁ ଅଟନ୍ତି; 30‘ଆଉ ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ମନ ଓ ସମସ୍ତ ଶକ୍ତି ଦେଇ ପ୍ରଭୁ ଆପଣା ଈଶ୍ବରଙ୍କୁ ପ୍ରେମ କର।’ 31ଦ୍ୱିତୀୟଟି ଏହି, ‘ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।’ ଏହି ଆଜ୍ଞାଗୁଡ଼ିକ ଅପେକ୍ଷା ଆଉ କୌଣସି ଶ୍ରେଷ୍ଠ ଆଜ୍ଞା ନାହିଁ।” 32ସେଥିରେ ସେହି ଶାସ୍ତ୍ରୀ ତାହାଙ୍କୁ କହିଲେ, ହେ ଗୁରୁ, ତାହା ସତ୍ୟ, ସେ ଯେ ଏକ ଓ ତାହାଙ୍କ ବିନା ଆଉ କେହି ନାହିଁ, ଏହା ଆପଣ ଯଥାର୍ଥ କହିଅଛନ୍ତି; 33ପୁଣି, ସମସ୍ତ ଅନ୍ତଃକରଣ, ସମସ୍ତ ବୁଦ୍ଧି ଓ ସମସ୍ତ ଶକ୍ତି ଦେଇ ତାହାଙ୍କୁ ପ୍ରେମ କରିବା ଏବଂ ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କରିବା ସମସ୍ତ ହୋମବଳି ଓ ବଳିଦାନ ଅପେକ୍ଷା ଗୁରୁତର। 34ସେ ବୁଦ୍ଧି ସହିତ ଉତ୍ତର ଦେଇଅଛନ୍ତି ଦେଖି ଯୀଶୁ ତାହାଙ୍କୁ କହିଲେ, “ଈଶ୍ବରଙ୍କ ରାଜ୍ୟଠାରୁ ତୁମ୍ଭେ ଦୂରବର୍ତ୍ତୀ ନୁହଁ।” ଏଥିଉତ୍ତାରେ କେହି ତାହାଙ୍କୁ ଆଉ କୌଣସି ପ୍ରଶ୍ନ ପଚାରିବାକୁ ସାହସ କଲେ ନାହିଁ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର