Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2027 › ନଭେମ୍ବର 7

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 7 ନଭେମ୍ବର 2027

ରବିବାର · ସାଧାରଣ କାଳର 32ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 32ତମ ରବିବାର

ରବିବାର · ଉପାସନାର ରଙ୍ଗ: ସବୁଜ

ଦିନର ପାଠ

ପ୍ରଥମ ପାଠ

ପ୍ର.ରା 17:10–16

10ତହିଁରେ ସେ ଉଠି ସାରିଫତ୍‍କୁ ଗଲେ ଓ ସେ ନଗର-ଦ୍ୱାର ନିକଟରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ବିଧବା ସ୍ତ୍ରୀ ସେଠାରେ କାଠ ସାଉଣ୍ଟୁଅଛି; ତହୁଁ ସେ ତାହାକୁ ଡାକି କହିଲେ, “ବିନୟ କରୁଅଛି, ଗୋଟିଏ ପାତ୍ରରେ କିଛି ଜଳ ଆଣ, ମୁଁ ପାନ କରିବି।” 11ଏଣୁ ସେ ସ୍ତ୍ରୀ ତାହା ଆଣିବା ପାଇଁ ଯିବା ବେଳେ ସେ ତାହାକୁ ପୁନର୍ବାର ଡାକି କହିଲେ, “ବିନୟ କରୁଅଛି, ମୋʼ ପାଇଁ ଖଣ୍ଡେ ରୁଟି ହାତରେ ଆଣ।” 12ତହୁଁ ସେ କହିଲା, “ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଜୀବିତ ଥିବା ପ୍ରମାଣେ ମୋʼ ଠାରେ ଗୋଟିଏ ପିଠା ନାହିଁ, କେବଳ କଳସରେ ମୁଠିଏ ମଇଦା ଓ ପାତ୍ରରେ ଅଳ୍ପ ତେଲ ଅଛି; ଆଉ ଦେଖ, ମୁଁ ଦୁଇ ଖଣ୍ଡ କାଠ ସାଉଣ୍ଟୁଅଛି, ଯେପରି ତାହା ନେଇଯାଇ ମୋʼ ପାଇଁ ଓ ମୋʼ ପୁତ୍ର ପାଇଁ ପାକ କରି ଖାଇବୁ, ତହିଁ ଉତ୍ତାରେ ମରିବୁ।” 13ଏଥିରେ ଏଲୀୟ ତାହାକୁ କହିଲେ, “ଭୟ କର ନାହିଁ; ଯାହା କହିଲ, ତାହା ଯାଇ କର; ମାତ୍ର ତହିଁରୁ ପ୍ରଥମେ ମୋʼ ପାଇଁ ଗୋଟିଏ ସାନ ପିଠା କରି ମୋʼ ନିକଟକୁ ଆଣ, ତହିଁ ଉତ୍ତାରେ ତୁମ୍ଭ ପାଇଁ ଓ ତୁମ୍ଭ ପୁତ୍ର ପାଇଁ କର। 14କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ଯେପର୍ଯ୍ୟନ୍ତ ସଦାପ୍ରଭୁ ଭୂମିରେ ବୃଷ୍ଟି ନ ବର୍ଷାନ୍ତି, ସେଦିନ ପର୍ଯ୍ୟନ୍ତ ମଇଦା-କଳସ ଶୂନ୍ୟ ହେବ ନାହିଁ, କିଅବା ପାତ୍ରରେ ତୈଳର ଅଭାବ ହେବ ନାହିଁ।” 15ତହିଁରେ ସେ ଯାଇ ଏଲୀୟଙ୍କ ବାକ୍ୟାନୁସାରେ କଲା; ପୁଣି, ସେ ଓ ଏଲୀୟ ଓ ସେହି ସ୍ତ୍ରୀର ପରିଜନ ଅନେକ ଦିନ ଯାଏ ଭୋଜନ କଲେ। 16ଏଲୀୟଙ୍କ ଦ୍ୱାରା ସଦାପ୍ରଭୁଙ୍କ କଥିତ ବାକ୍ୟାନୁସାରେ ମଇଦା-କଳସ ଶୂନ୍ୟ ହେଲା ନାହିଁ, କିଅବା ପାତ୍ରରେ ତୈଳର ଅଭାବ ହେଲା ନାହିଁ।

ପ୍ରତିଉତ୍ତର ଗୀତ

ଗୀତ 146:7–10

7ସେ ଉପଦ୍ରବଗ୍ରସ୍ତ ଲୋକ ପକ୍ଷରେ ନ୍ୟାୟବିଚାର କରନ୍ତି; ସେ କ୍ଷୁଧିତକୁ ଭକ୍ଷ୍ୟ ଦିଅନ୍ତି; ସଦାପ୍ରଭୁ ବନ୍ଦୀଗଣକୁ ମୁକ୍ତ କରନ୍ତି। 8ସଦାପ୍ରଭୁ ଅନ୍ଧମାନଙ୍କର ଚକ୍ଷୁ ପ୍ରସନ୍ନ କରନ୍ତି; ସଦାପ୍ରଭୁ ନଇଁ ପଡ଼ିବା ଲୋକମାନଙ୍କୁ ଉଠାନ୍ତି; ସଦାପ୍ରଭୁ ଧାର୍ମିକମାନଙ୍କୁ ପ୍ରେମ କରନ୍ତି। 9ସଦାପ୍ରଭୁ ବିଦେଶୀମାନଙ୍କୁ ରକ୍ଷା କରନ୍ତି; ସେ ପିତୃହୀନ ଓ ବିଧବାକୁ ଧରି ରଖନ୍ତି; ମାତ୍ର ଦୁଷ୍ଟମାନଙ୍କର ଗତି ସେ ଓଲଟାଇ ପକାନ୍ତି। 10ସଦାପ୍ରଭୁ ଅନନ୍ତକାଳ ରାଜ୍ୟ କରିବେ, ହେ ସିୟୋନ, ତୁମ୍ଭର ପରମେଶ୍ୱର ସକଳ ପୁରୁଷାନୁକ୍ରମରେ ରାଜ୍ୟ କରିବେ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ଦ୍ୱିତୀୟ ପାଠ

ଏବ୍ରୀ 9:24–28

24କାରଣ ପ୍ରକୃତ ବିଷୟର ପ୍ରତିରୂପ ଯେ ହସ୍ତକୃତ ମହାପବିତ୍ର ସ୍ଥାନ, ସେଥିରେ ଖ୍ରୀଷ୍ଟ ପ୍ରବେଶ ନ କରି ବରଂ ଆମ୍ଭମାନଙ୍କ ନିମନ୍ତେ ଏବେ ଈଶ୍ବରଙ୍କ ସମ୍ମୁଖରେ ଉପସ୍ଥିତ ହେବା ପାଇଁ ସ୍ୱର୍ଗରେ ପ୍ରବେଶ କରିଅଛନ୍ତି। 25ମହାଯାଜକ ଯେପରି ଅନ୍ୟର ରକ୍ତ ଘେନି ବର୍ଷକୁ ବର୍ଷ ମହାପବିତ୍ର ସ୍ଥାନରେ ପ୍ରବେଶ କରନ୍ତି, ସେହିପରି ସେ ଯେ ଥରକୁଥର ଆପଣାକୁ ଉତ୍ସର୍ଗ କରିବେ, ତାହା ନୁହେଁ; 26ତାହାହେଲେ ଜଗତର ପତ୍ତନ ସମୟଠାରୁ ଥରକୁଥର ତାହାଙ୍କୁ ମୃତ୍ୟୁଭୋଗ କରିବାକୁ ହୋଇଥାଆନ୍ତା; କିନ୍ତୁ ଏବେ ସେ ଯୁଗାନ୍ତ ସମୟରେ ଆପଣାକୁ ବଳି ରୂପେ ଉତ୍ସର୍ଗ କରିବା ଦ୍ୱାରା ପାପ ଦୂର କରିବାକୁ ପ୍ରକାଶିତ ହୋଇଅଛନ୍ତି। 27ମନୁଷ୍ୟମାନଙ୍କ ନିମନ୍ତେ ଯେପରି ଥରେ ମାତ୍ର ମୃତ୍ୟୁ, 28ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେ ମାତ୍ର ଉତ୍ସର୍ଗୀକୃତ ହେଲେ, କିନ୍ତୁ ଦ୍ୱିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ।

ସୁସମାଚାର

ମାର୍କ 12:38–44

38ସର୍ବସାଧାରଣ ଲୋକେ ଆନନ୍ଦରେ ତାହାଙ୍କ କଥା ଶୁଣୁଥିଲେ। ପୁନଶ୍ଚ, ସେ ଆପଣା ଶିକ୍ଷା ମଧ୍ୟରେ କହିଲେ, “ଶାସ୍ତ୍ରୀମାନଙ୍କଠାରୁ ସାବଧାନ! ସେମାନେ ଲମ୍ବା ବସ୍ତ୍ର ପରିଧାନ କରି ଭ୍ରମଣ କରିବାକୁ, ପୁଣି, ହାଟ ବଜାରରେ ନମସ୍କାର, 39ସମାଜଗୃହରେ ପ୍ରଧାନ ଆସନ ଓ ଭୋଜିରେ ପ୍ରଧାନ ସ୍ଥାନ ଗ୍ରହଣ କରିବାକୁ ଭଲ ପାଆନ୍ତି; 40ସେମାନେ ବିଧବାମାନଙ୍କର ଗୃହସବୁ ଗ୍ରାସ କରନ୍ତି ଓ ଛଳନା କରି ଦୀର୍ଘ ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ଡ ପାଇବେ।” 41ପରେ ସେ ଭଣ୍ଡାର ସମ୍ମୁଖରେ ବସି ଲୋକସମୂହ କିପରି ଭଣ୍ଡାରରେ ପଇସା ପକାଉଅଛନ୍ତି, ତାହା ଦେଖୁଥିଲେ। ସେତେବେଳେ ଅନେକ ଧନୀ ଲୋକ ଭଣ୍ଡାରରେ ବେଶି ପକାଇଲେ; 42ଆଉ ଜଣେ ଦରିଦ୍ର ବିଧବା ଆସି ଏକ ପାହୁଲା ମୂଲ୍ୟର ଦୁଇ କ୍ଷୁଦ୍ର ମୁଦ୍ରା ଭଣ୍ଡାରରେ ପକାଇଲା। 43ତହିଁରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭଣ୍ଡାରରେ ମୁଦ୍ରା ପକାଉଥିବା ସମସ୍ତ ଲୋକଙ୍କ ଅପେକ୍ଷା ଏହି ଦରିଦ୍ର ବିଧବା ଅଧିକ ପକାଇଅଛି; 44କାରଣ ସମସ୍ତେ ଆପଣା ଆପଣା ଅତିରିକ୍ତ ଧନରୁ କିଛି କିଛି ପକାଇଲେ, କିନ୍ତୁ ଏ ଆପଣାର ଅନାଟନ ଅବସ୍ଥାରେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ତାହାର ଯାହା କିଛି ଥିଲା, ସେହିସବୁ ପକାଇଲା।”

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର B, ସପ୍ତାହ ଦିନର ବର୍ଷ I।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର