ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2027 › ନଭେମ୍ବର 30
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 30 ନଭେମ୍ବର 2027
ମଙ୍ଗଳବାର · ଆଗମନ କାଳର ପ୍ରଥମ ସପ୍ତାହ
ପର୍ବ ଓ ସନ୍ଥ
ସନ୍ଥ ଆନ୍ଦ୍ରିୟ, ପ୍ରେରିତ
ପର୍ବ · ଉପାସନାର ରଙ୍ଗ: ନାଲି
ଦିନର ପାଠ
ପ୍ରଥମ ପାଠ
9ଯେଣୁ ତୁମ୍ଭେ ଯଦି ମୁଖରେ ଯୀଶୁଙ୍କୁ ପ୍ରଭୁ ବୋଲି ସ୍ୱୀକାର କରିବ, ଆଉ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି ବୋଲି ହୃଦୟରେ ବିଶ୍ୱାସ କରିବ, ତେବେ ପରିତ୍ରାଣ ପ୍ରାପ୍ତ ହେବ; 10କାରଣ ଧାର୍ମିକତାପ୍ରାପ୍ତି ନିମନ୍ତେ ମନୁଷ୍ୟ ହୃଦୟରେ ବିଶ୍ୱାସ କରେ ଓ ପରିତ୍ରାଣ ପ୍ରାପ୍ତି ନିମନ୍ତେ ମୁଖରେ ସ୍ୱୀକାର କରେ। 11ଯେଣୁ ଶାସ୍ତ୍ର କହେ, ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ଲଜ୍ଜିତ ହେବ ନାହିଁ। 12କାରଣ ଯିହୁଦୀ ଓ ଗ୍ରୀକ୍ ମଧ୍ୟରେ କିଛି ପ୍ରଭେଦ ନାହିଁ; ଯେଣୁ ସମସ୍ତଙ୍କର ତ ଏକ ପ୍ରଭୁ, ଆଉ ଯେତେ ଲୋକ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ପ୍ରତି ସେ ଅନୁଗ୍ରହର ନିଧିସ୍ୱରୂପ। 13କାରଣ ଯେ କେହି ପ୍ରଭୁଙ୍କ ନାମ ଧରି ପ୍ରାର୍ଥନା କରିବ, ସେ ପରିତ୍ରାଣ ପ୍ରାପ୍ତ ହେବ। 14ତେବେ ଯାହାଙ୍କୁ ସେମାନେ ବିଶ୍ୱାସ କରି ନାହାନ୍ତି, ତାହାଙ୍କ ନିକଟରେ କିପରି ପ୍ରାର୍ଥନା କରିବେ? ପୁଣି, ଯାହାଙ୍କ କଥା ସେମାନେ ଶୁଣି ନାହାନ୍ତି, କିପରି ତାହାଙ୍କଠାରେ ବିଶ୍ୱାସ କରିବେ? ଆଉ ପ୍ରଚାରକ ବିନା ସେମାନେ କିପରି ଶୁଣିବେ? 15ପୁଣି, ପ୍ରେରିତ ନ ହେଲେ କିପରି ପ୍ରଚାର କରିବେ? ଯେପରି ଲେଖାଅଛି, “ଯେଉଁମାନେ ଶୁଭ ବିଷୟର ସୁସମାଚାର ଆଣନ୍ତି, ସେମାନଙ୍କର ପାଦ କିପରି ଶୋଭାଯୁକ୍ତ।” 16କିନ୍ତୁ ସମସ୍ତେ ସୁସମାଚାରର ବଶୀଭୂତ ହେଲେ ନାହିଁ। କାରଣ ଯିଶାଇୟ କହନ୍ତି, “ହେ ପ୍ରଭୁ, କିଏ ଆମ୍ଭମାନଙ୍କ ସମ୍ବାଦ ବିଶ୍ୱାସ କରିଅଛି?” 17ଅତଏବ, ବିଶ୍ୱାସ ଶ୍ରବଣରୁ ଜାତ ହୁଏ ଓ ଶ୍ରବଣ ଖ୍ରୀଷ୍ଟଙ୍କ ବାକ୍ୟ ଦ୍ୱାରା ହୁଏ। 18କିନ୍ତୁ ମୁଁ କହେ, “ସେମାନେ କି ଶୁଣି ନାହାନ୍ତି? ହଁ, ନିଶ୍ଚୟ; ସମୁଦାୟ ପୃଥିବୀରେ ସେମାନଙ୍କ ସ୍ୱର, ଆଉ ଜଗତର ସୀମା ପର୍ଯ୍ୟନ୍ତ ସେମାନଙ୍କ ବାକ୍ୟ ବ୍ୟାପିଗଲା।”
ପ୍ରତିଉତ୍ତର ଗୀତ
1ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ଆକାଶମଣ୍ଡଳ ପରମେଶ୍ୱରଙ୍କ ଗୌରବ ବର୍ଣ୍ଣନା କରେ; ଶୂନ୍ୟମଣ୍ଡଳ ତାହାଙ୍କ ହସ୍ତକୃତ କର୍ମ ପ୍ରକାଶ କରେ। 2ଦିବସ ଦିବସ ପ୍ରତି ବାକ୍ୟ ଉଚ୍ଚାରଣ କରେ ଓ ରାତ୍ରି ରାତ୍ରି ପ୍ରତି ଜ୍ଞାନ ପ୍ରକାଶ କରେ। 3କୌଣସି ବାକ୍ୟ କି ଭାଷା ନ ଥାଏ; ସେମାନଙ୍କ ରବ ଶୁଣାଯାଇ ନ ପାରେ। 4ତଥାପି ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେ ଓ ସେମାନଙ୍କର ବାକ୍ୟ ଜଗତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ। ସେମାନଙ୍କ ମଧ୍ୟରେ ସେ ସୂର୍ଯ୍ୟ ନିମନ୍ତେ ଏକ ଆବାସ ସ୍ଥାପନ କରିଅଛନ୍ତି,
ସୁସମାଚାର
18ସେ ଗାଲିଲୀ ସମୁଦ୍ରକୂଳରେ ବୁଲୁଥିବା ସମୟରେ ଶିମୋନ, ଯାହାଙ୍କୁ ପିତର ବୋଲି କହନ୍ତି, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଏହି ଦୁଇ ଭାଇଙ୍କୁ ସମୁଦ୍ରରେ ଭଉଁରୀଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ। 19ସେ ସେମାନଙ୍କୁ କହିଲେ, “ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି।” 20ସେଥିରେ ସେମାନେ ସେହିକ୍ଷଣି ଜାଲ ଛାଡ଼ି ତାହାଙ୍କର ଅନୁଗମନ କଲେ। 21ପୁଣି, ସେ ସେଠାରୁ ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାହାଙ୍କ ଭାଇ ଯୋହନ ନାମକ ଆଉ ଦୁଇ ଭାଇଙ୍କୁ ସେମାନଙ୍କ ପିତା ଜେବଦୀଙ୍କ ସହିତ ନୌକାରେ ଜାଲ ସଜାଡ଼ୁଥିବା ଦେଖି ସେମାନଙ୍କୁ ଡାକିଲେ। 22ସେଥିରେ ସେମାନେ ସେହିକ୍ଷଣି ନୌକା ଓ ସେମାନଙ୍କର ପିତାଙ୍କୁ ଛାଡ଼ି ତାହାଙ୍କର ଅନୁଗମନ କଲେ।
ଆଜିର ସନ୍ଥ
- ସନ୍ଥ ଆନ୍ଦ୍ରିୟ, ପ୍ରେରିତ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର C, ସପ୍ତାହ ଦିନର ବର୍ଷ II।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର