Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2027 › ଡିସେମ୍ବର 5

ଅର୍ଥୋଡକ୍ସ ପଞ୍ଜିକା · 22 ନଭେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 5 ଡିସେମ୍ବର 2027

ରବିବାର · ସ୍ୱର 7

ପର୍ବ ଓ ସନ୍ଥ

ପେଣ୍ଟିକଷ୍ଟ ପରେ 24ତମ ରବିବାର

ଜନ୍ମ ପର୍ବର ଉପବାସ

ମାଛ ଚଳିବ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପ୍ରଭାତୀ ପ୍ରାର୍ଥନାର ଦ୍ୱିତୀୟ ସୁସମାଚାର

ମାର୍କ 16:1–8

1ବିଶ୍ରାମବାର ବିତିଗଲା ଉତ୍ତାରେ ମଗ୍‌ଦଲୀନୀ ମରୀୟମ, ଯାକୁବଙ୍କ ମାତା ମରୀୟମ ଓ ଶଲୋମୀ ସୁଗନ୍ଧିଦ୍ରବ୍ୟ କିଣିଲେ, ଯେପରି ସେମାନେ ଯାଇ ତାହାଙ୍କୁ ମଖାଇଦେଇ ପାରନ୍ତି। 2ପୁଣି, ସପ୍ତାହର ପ୍ରଥମ ଦିବସର ଅତି ପ୍ରତ୍ୟୁଷରେ ସେମାନେ ସମାଧି ନିକଟକୁ ଗଲେ, ସେତେବେଳେ ସୂର୍ଯ୍ୟ ଉଠିଲା। 3ସେମାନେ ପରସ୍ପରକୁ କହୁଥିଲେ, କିଏ ଆମ୍ଭମାନଙ୍କ ପାଇଁ ସମାଧି-ଦ୍ୱାରରୁ ପଥରଟା ଗଡ଼ାଇଦେବ? କାରଣ ତାହା ଅତି ବୃହତ ଥିଲା। 4ଏପରି ସମୟରେ ସେମାନେ ଚାହିଁ ଦେଖିଲେ ଯେ, ପଥର ଗଡ଼ାଇ ଦିଆଯାଇଅଛି। 5ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳ ବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ୱରେ ବସିଥିବା ଦେଖି ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହେଲେ। 6ସେଥିରେ ସେ ସେମାନଙ୍କୁ କହିଲେ, ଭୟ କର ନାହିଁ; ତୁମ୍ଭେମାନେ କ୍ରୁଶରେ ହତ ନାଜରିତୀୟ ଯୀଶୁଙ୍କର ଅନ୍ୱେଷଣ କରୁଅଛ; ସେ ଉଠିଅଛନ୍ତି, ସେ ଏଠାରେ ନାହାନ୍ତି; ଦେଖ, ଏହି ସ୍ଥାନରେ ସେମାନେ ତାହାଙ୍କୁ ରଖିଥିଲେ। 7କିନ୍ତୁ ତୁମ୍ଭେମାନେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଓ ପିତରଙ୍କୁ କୁହ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି; ଯୀଶୁ ତୁମ୍ଭମାନଙ୍କୁ ଯେପରି କହିଥିଲେ, ସେପରି ତୁମ୍ଭେମାନେ ତାହାଙ୍କୁ ସେଠାରେ ଦେଖିବ। 8ସେଥିରେ ସେମାନେ ବାହାରି ସମାଧି ନିକଟରୁ ପଳାଇଗଲେ, କାରଣ ସେମାନେ ଭୟରେ କମ୍ପୁଥିଲେ ଓ ଆଶ୍ଚର୍ଯ୍ୟ ହୋଇଥିଲେ, ପୁଣି, କାହାକୁ କିଛି କହିଲେ ନାହିଁ, ଯେଣୁ ସେମାନେ ଭୀତ ହୋଇଥିଲେ।

ପତ୍ର

ଏଫି 2:14–22

14କାରଣ ସେ ତ ଆମ୍ଭମାନଙ୍କ ଶାନ୍ତି, ସେ ଶତ୍ରୁତାରୂପ ମଧ୍ୟବର୍ତ୍ତୀ ବିଚ୍ଛେଦ-ପ୍ରାଚୀର ଭଗ୍ନ କରି ଉଭୟକୁ ଏକ କରିଅଛନ୍ତି, 15ପୁଣି, ବିଧିବିଧାନଯୁକ୍ତ ଆଜ୍ଞାମୂଳକ ବ୍ୟବସ୍ଥାକୁ ଆପଣା ଶରୀରରେ ରହିତ କରିଅଛନ୍ତି, ଯେପରି ସେ ଶାନ୍ତି ସ୍ଥାପନ କରି ଉଭୟକୁ ଆପଣାଠାରେ ଜଣେ ନୂଆ ଲୋକ ସ୍ୱରୂପେ ସୃଷ୍ଟି କରନ୍ତି, 16ଆଉ କ୍ରୁଶ ଦ୍ୱାରା ଶତ୍ରୁତା ବିନାଶ କରି ତଦ୍ୱାରା ଉଭୟକୁ ଏକ ଶରୀର ସ୍ୱରୂପ ଗଠନ କରି ଈଶ୍ବରଙ୍କ ସହିତ ମିଳିତ କରାନ୍ତି। 17ଆଉ ତୁମ୍ଭେମାନେ ଯେ ଈଶ୍ବରଙ୍କଠାରୁ ଦୂରରେ ଥିଲ, ଉଭୟଙ୍କ ନିକଟରେ ଖ୍ରୀଷ୍ଟ ଆସି ଶାନ୍ତିର ସୁସମାଚାର ପ୍ରଚାର କଲେ; 18କାରଣ ତାହାଙ୍କ ଦେଇ ଆମ୍ଭେମାନେ ଉଭୟ ଏକ ଆତ୍ମାଙ୍କ ଦ୍ୱାରା ପିତାଙ୍କ ନିକଟକୁ ଯିବା ପାଇଁ ପଥ ପାଇଅଛୁ। 19ଅତଏବ ତୁମ୍ଭେମାନେ ଆଉ ବିଦେଶୀ ବା ପ୍ରବାସୀ ନୁହଁ, କିନ୍ତୁ ସାଧୁମାନଙ୍କ ସହିତ ସହନାଗରିକ ଓ ଈଶ୍ବରଙ୍କ ପରିବାରଭୁକ୍ତ ଅଟ; 20ତୁମ୍ଭେମାନେ ପ୍ରେରିତ ଓ ଭାବବାଦୀମାନଙ୍କର ଭିତ୍ତିମୂଳ ଉପରେ ନିର୍ମିତ ହୋଇଅଛ, ଖ୍ରୀଷ୍ଟ ଯୀଶୁ ସ୍ୱୟଂ ସେଥିର କୋଣର ପ୍ରଧାନ ପ୍ରସ୍ତର; 21ତାହାଙ୍କଠାରେ ପ୍ରତ୍ୟେକ ଗୃହ ଏକତ୍ର ସଂଲଗ୍ନ ହୋଇ ପ୍ରଭୁଙ୍କଠାରେ ଗୋଟିଏ ପବିତ୍ର ମନ୍ଦିର ସ୍ୱରୂପେ ବୃଦ୍ଧି ପାଉଅଛି; 22ତାହାଙ୍କଠାରେ ତୁମ୍ଭେମାନେ ମଧ୍ୟ ଈଶ୍ବରଙ୍କ ଆତ୍ମାଙ୍କ ନିବାସ ନିମନ୍ତେ ଏକତ୍ର ନିର୍ମିତ ହେଉଅଛ।

ସୁସମାଚାର

ଲୂକ 12:16–21

16ଆଉ ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ କହିଲେ, “ଜଣେ ଧନୀ ଲୋକର କ୍ଷେତରେ ବହୁତ ଫସଲ ହେଲା। 17ସେଥିରେ ସେ ମନେ ମନେ ଚିନ୍ତା କରି କହିଲେ, କଅଣ କରିବି? କାରଣ ମୋହର ଫସଲ ସଂଗ୍ରହ କରି ରଖିବା ନିମନ୍ତେ ସ୍ଥାନ ନାହିଁ। 18ପୁଣି, ସେ କହିଲା, ଏହା କରିବି; ମୋହର ଅମାରସବୁ ଭାଙ୍ଗି ବଡ଼ ବଡ଼ କରି ତୋଳିବି ଓ ସେସବୁରେ ମୋହର ଶସ୍ୟ ଓ ଦ୍ରବ୍ୟ ସବୁ ସଂଗ୍ରହ କରି ରଖିବି, 19ଆଉ ମୁଁ ମୋହର ପ୍ରାଣକୁ କହିବି, ରେ ପ୍ରାଣ, ଅନେକ ବର୍ଷ ନିମନ୍ତେ ତୋର ବହୁତ ଖାଦ୍ୟଶସ୍ୟ ସଞ୍ଚିତ ଅଛି, ବିଶ୍ରାମ କର୍, ଭୋଜନ କର୍, ଆମୋଦ କର୍; 20କିନ୍ତୁ ଈଶ୍ବର ତାହାକୁ କହିଲେ, ରେ ନିର୍ବୋଧ, ଆଜି ରାତିରେ ତୋର ପ୍ରାଣ ତୋʼଠାରୁ ନିଆଯିବ; ସେଥିରେ ତୁ ଯାହା ଯାହା ସଞ୍ଚୟ କରିଅଛୁ, ସେହିସବୁ କାହାର ହେବ? 21ଯେ ଆପଣା ନିମନ୍ତେ ଧନ ସଞ୍ଚୟ କରେ, କିନ୍ତୁ ଈଶ୍ବରଙ୍କ ବିଷୟରେ ଧନୀ ନୁହେଁ, ତାହା ପ୍ରତି ଏହିପରି ଘଟେ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ନଭେମ୍ବର 22 ନାଗରିକ ପଞ୍ଜିକାର ଡିସେମ୍ବର 5। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର