Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2027 › ଡିସେମ୍ବର 7

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 7 ଡିସେମ୍ବର 2027

ମଙ୍ଗଳବାର · ଆଗମନ କାଳର ଦ୍ୱିତୀୟ ସପ୍ତାହ

ପର୍ବ ଓ ସନ୍ଥ

ଆଗମନ କାଳର ଦ୍ୱିତୀୟ ସପ୍ତାହର ମଙ୍ଗଳବାର

ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା

ସନ୍ଥ ଆମ୍ବ୍ରୋସ୍, ଧର୍ମାଧ୍ୟକ୍ଷ ଓ ମଣ୍ଡଳୀର ଆଚାର୍ଯ୍ୟ · ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ଯିଶା 40:1–11

1ମୋʼ ଲୋକମାନଙ୍କୁ ସାନ୍ତ୍ୱନା କର, ସାନ୍ତ୍ୱନା କର, ଏହା ତୁମ୍ଭମାନଙ୍କର ପରମେଶ୍ୱର କହନ୍ତି। 2ତୁମ୍ଭେମାନେ ଯିରୂଶାଲମକୁ ଚିତ୍ତ ପ୍ରବୋଧକ କଥା କୁହ, ଆଉ ତାହାର ସଂଗ୍ରାମ ସମାପ୍ତ ହେଲା, ତାହାର ଅପରାଧ କ୍ଷମା ହେଲା, ସେ ସଦାପ୍ରଭୁଙ୍କ ହସ୍ତରୁ ଆପଣାର ସମସ୍ତ ପାପ ସକାଶୁ ଦୁଇଗୁଣ ପାଇଅଛି ବୋଲି ତାହା ନିକଟରେ ପ୍ରଚାର କର। 3ଏକ ଜଣର ରବ ପ୍ରଚାର କରେ, “ତୁମ୍ଭେମାନେ ପ୍ରାନ୍ତରରେ ସଦାପ୍ରଭୁଙ୍କ ପଥ ପ୍ରସ୍ତୁତ କର, ମରୁଭୂମି ମଧ୍ୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିମନ୍ତେ ରାଜପଥ ସଳଖ କର। 4ପ୍ରତ୍ୟେକ ଉପତ୍ୟକା ଉଚ୍ଚ କରାଯିବ, ପ୍ରତ୍ୟେକ ପର୍ବତ ଓ ଉପପର୍ବତ ନୀଚ କରାଯିବ ଓ ବକ୍ର ସଳଖ କରାଯିବ, ଆଉ ରଗଡ଼ା ସ୍ଥାନସବୁ ସମାନ କରାଯିବ; 5ପୁଣି, ସଦାପ୍ରଭୁଙ୍କ ମହିମା ପ୍ରକାଶିତ ହେବ ଓ ଯାବତୀୟ ମର୍ତ୍ତ୍ୟ ଏକତ୍ର ତାହା ଦେଖିବେ; କାରଣ ସଦାପ୍ରଭୁଙ୍କ ମୁଖ ଏହା କହିଅଛି।” 6ଏକ ଜଣର ରବ କହେ, “ପ୍ରଚାର କର,” ତହିଁରେ ଜଣେ କହିଲା, “କଅଣ ପ୍ରଚାର କରିବା?” ମର୍ତ୍ତ୍ୟ ମାତ୍ର ତୃଣ ସ୍ୱରୂପ ଓ ତାହାର ସମସ୍ତ ଶୋଭା କ୍ଷେତ୍ରସ୍ଥ ପୁଷ୍ପର ତୁଲ୍ୟ; 7ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମ୍ଳାନ ହୁଏ; କାରଣ ତହିଁ ଉପରେ ସଦାପ୍ରଭୁଙ୍କର ଶ୍ୱାସବାୟୁ ବହେ, ନିଶ୍ଚୟ ଲୋକମାନେ ତୃଣ ସ୍ୱରୂପ। 8ତୃଣ ଶୁଷ୍କ ହୋଇଯାଏ, ପୁଷ୍ପ ମଳିନ ହୁଏ; ମାତ୍ର ଆମ୍ଭମାନଙ୍କ ପରମେଶ୍ୱରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ। 9ହେ ସିୟୋନ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ଉଚ୍ଚ ପର୍ବତକୁ ଯାଅ; ହେ ଯିରୂଶାଲମ ନିକଟରେ ସୁସମାଚାର ପ୍ରଚାରକାରିଣୀ, ତୁମ୍ଭେ ବଳରେ ଉଚ୍ଚସ୍ୱର କର, ଉଚ୍ଚସ୍ୱର କର, ଭୟ କର ନାହିଁ; ଯିହୁଦାର ନଗରସମୂହକୁ କୁହ, “ହେଇ ଦେଖ, ତୁମ୍ଭମାନଙ୍କ ପରମେଶ୍ୱର!” 10ଦେଖ, ପ୍ରଭୁ ସଦାପ୍ରଭୁ ପରାକ୍ରମୀର ତୁଲ୍ୟ ଆସିବେ ଓ ତାହାଙ୍କର ବାହୁ ତାହାଙ୍କ ପାଇଁ କର୍ତ୍ତୃତ୍ୱ କରିବ; ଦେଖ, ତାହାଙ୍କ ସଙ୍ଗେ ତାହାଙ୍କର ପୁରସ୍କାର ଅଛି ଓ ତାହାଙ୍କ ଆଗରେ ତାହାଙ୍କର ପ୍ରତିଫଳ ଅଛି। 11ସେ ମେଷପାଳକ ପରି ଆପଣା ପଲ ଚରାଇବେ, ମେଷଛୁଆମାନଙ୍କୁ ସେ ଆପଣା ବାହୁରେ ସଂଗ୍ରହ କରିବେ ଓ ଆପଣା କୋଳରେ ସେମାନଙ୍କୁ ବହି ନେବେ, ଆଉ ଦୁଗ୍ଧଦାୟିନୀମାନଙ୍କୁ ଧୀରେ ଧୀରେ ଚଳାଇବେ।

ପ୍ରତିଉତ୍ତର ଗୀତ

ଗୀତ 96:1–3, 10–13

1ଆହେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର। 2ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରି ତାହାଙ୍କ ନାମର ଧନ୍ୟବାଦ କର; ତାହାଙ୍କ ପରିତ୍ରାଣ ଦିନକୁ ଦିନ ପ୍ରକାଶ କର। 3ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମସ୍ତ ଗୋଷ୍ଠୀ ମଧ୍ୟରେ ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ପ୍ରକାଶ କର। 10“ସଦାପ୍ରଭୁ ରାଜ୍ୟ କରନ୍ତି, ଏହା ଗୋଷ୍ଠୀବର୍ଗ ମଧ୍ୟରେ କୁହ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ହୋଇ ନ ପାରେ; ସେ ଗୋଷ୍ଠୀବର୍ଗକୁ ନ୍ୟାୟରେ ବିଚାର କରିବେ।” 11ଆକାଶମଣ୍ଡଳ ଆନନ୍ଦିତ ହେଉ ଓ ପୃଥିବୀ ଉଲ୍ଲାସ କର; ସମୁଦ୍ର ଓ ତହିଁର ପୂର୍ଣ୍ଣତା ଗର୍ଜ୍ଜନ କରୁ; 12କ୍ଷେତ୍ର ଓ ତନ୍ମଧ୍ୟସ୍ଥସକଳ ଜୟଧ୍ୱନି କରନ୍ତୁ; ତେବେ ବନସ୍ଥ ବୃକ୍ଷସକଳ ଆନନ୍ଦରେ ଗାନ କରିବେ; 13ସଦାପ୍ରଭୁଙ୍କ ସମ୍ମୁଖରେ ଗାନ କରିବେ; କାରଣ ସେ ଆସୁଅଛନ୍ତି; ସେ ପୃଥିବୀର ବିଚାର କରିବାକୁ ଆସୁଅଛନ୍ତି; ସେ ଧର୍ମରେ ଜଗତର ଓ ଆପଣା ସତ୍ୟତାରେ ଗୋଷ୍ଠୀବର୍ଗର ବିଚାର କରିବେ।

ସୁସମାଚାର

ମାଥି 18:12–14

12ତୁମ୍ଭେମାନେ କଅଣ ମନେ କଲ? କୌଣସି ଲୋକର ଯଦି ଶହେ ମେଣ୍ଢା ଥାଏ, ଆଉ ସେମାନଙ୍କ ମଧ୍ୟରୁ ଗୋଟିଏ ହଜିଯାଏ, ତେବେ କଅଣ ଅନେଶତକୁ ପର୍ବତରେ ଛାଡ଼ି ସେ ଯାଇ ହଜିଯାଇଥିବା ମେଣ୍ଢାଟି ଖୋଜେ ନାହିଁ? 13ଆଉ ଯଦି ସେ ତାହାକୁ ପାଏ, ତାହାହେଲେ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଅନେଶତଟି ହଜି ଯାଇ ନ ଥିଲେ, ସେମାନଙ୍କ ଅପେକ୍ଷା ଏହି ଗୋଟିକ ଲାଗି ସେ ଅଧିକ ଆନନ୍ଦ କରେ। 14ସେହି ପ୍ରକାରେ ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଯେ ଗୋଟିଏ ବିନଷ୍ଟ ହୁଏ, ଏହା ତୁମ୍ଭମାନଙ୍କର ସ୍ୱର୍ଗସ୍ଥ ପିତାଙ୍କର ଇଚ୍ଛା ନୁହେଁ।

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର C, ସପ୍ତାହ ଦିନର ବର୍ଷ II।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର