ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2027 › ଡିସେମ୍ବର 8
ଅର୍ଥୋଡକ୍ସ ପଞ୍ଜିକା · 25 ନଭେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 8 ଡିସେମ୍ବର 2027
ବୁଧବାର · ପେଣ୍ଟିକଷ୍ଟ ପରେ 25ତମ ସପ୍ତାହ · ସ୍ୱର 7
ପର୍ବ ଓ ସନ୍ଥ
Apodosis of the Entry of the Theotokos
ଜନ୍ମ ପର୍ବର ଉପବାସ
ଉପବାସ: ତେଲ ବିନା ରନ୍ଧା ଖାଦ୍ୟ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
1ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନ ଓ ତାହାଙ୍କ ନିକଟରେ ଆମ୍ଭମାନଙ୍କ ଏକତ୍ର ହେବା ବିଷୟରେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, 2ପ୍ରଭୁଙ୍କ ଆଗମନର ଦିନ ଉପସ୍ଥିତ ହେଲାଣି ବୋଲି ତୁମ୍ଭେମାନେ କୌଣସି ଆତ୍ମା କି ବାକ୍ୟ କି ଆମ୍ଭମାନଙ୍କ ଦ୍ୱାରା ଲେଖାଯାଇଅଛି ବୋଲି ମନେ କରି କୌଣସି ପତ୍ର ଦ୍ୱାରା ଶୀଘ୍ର ବିଚଳିତ ଓ ଉଦ୍ବିଗ୍ନ ନ ହୁଅ; 3କେହି କୌଣସି ପ୍ରକାରେ ତୁମ୍ଭମାନଙ୍କୁ ପ୍ରତାରିତ ନ କରୁ, କାରଣ ପ୍ରଥମେ ଧର୍ମଚ୍ୟୁତି ଘଟିବ, ଆଉ ବିନାଶର ସନ୍ତାନ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବା ଆବଶ୍ୟକ; ନ ହେଲେ ପ୍ରଭୁଙ୍କ ଆଗମନର ଦିନ ଉପସ୍ଥିତ ହେବ ନାହିଁ। 4ଏ ସେହି ଅଧର୍ମ ପୁରୁଷ ଯେ ପୂଜିତ କିମ୍ବା ଈଶ୍ବରଙ୍କ ବିରୋଧ କରେ ଏବଂ ସମସ୍ତଙ୍କଠାରୁ ନିଜକୁ ଅଧିକ ପ୍ରଶଂସା କରେ, ଏପରିକି ଈଶ୍ବରଙ୍କ ମନ୍ଦିରରେ ବସି ସେ ଆପଣାକୁ ଈଶ୍ବର ବୋଲି ଦେଖାଏ। 5ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ଏହିସବୁ ବିଷୟ ଯେ ତୁମ୍ଭମାନଙ୍କୁ କହିଥିଲି, ତାହା କଅଣ ତୁମ୍ଭମାନଙ୍କର ମନେ ନାହିଁ? 6ଆଉ ସେ ନିରୂପିତ ସମୟରେ ପ୍ରକାଶିତ ହେବା ନିମନ୍ତେ କଅଣ ବାଧା ଦେଉଅଛି, ତାହା ତ ତୁମ୍ଭେମାନେ ଜାଣ। 7କାରଣ ଅଧର୍ମର ନିଗୂଢ଼ତତ୍ତ୍ୱ ବର୍ତ୍ତମାନ ସୁଦ୍ଧା କାର୍ଯ୍ୟ କରୁଅଛି, ବାଧା ଦେଉଥିବା ବ୍ୟକ୍ତି ବାହାର ନ ହେବା ପର୍ଯ୍ୟନ୍ତ ତାହା କାର୍ଯ୍ୟ କରୁଥିବ। 8ସେତେବେଳେ ସେହି ଅଧର୍ମ ପୁରୁଷ ପ୍ରକାଶିତ ହେବ, ତାହାକୁ ପ୍ରଭୁ ଯୀଶୁ ଆପଣା ମୁଖର ନିଶ୍ୱାସ ଦ୍ୱାରା ସଂହାର କରିବେ ଓ ଆପଣା ଆଗମନର ପ୍ରକାଶ ଦ୍ୱାରା ବିନାଶ କରିବେ। 9ଶୟତାନର ଶକ୍ତି ଅନୁସାରେ ସମସ୍ତ ପ୍ରକାର ମିଥ୍ୟାଶକ୍ତି, ଚିହ୍ନ ଓ ଅଦ୍ଭୁତ କର୍ମ, ପୁଣି ବିନାଶ-ପାତ୍ରମାନଙ୍କ ନିକଟରେ ସମସ୍ତ ପ୍ରକାର ଅଧର୍ମ ଛଳନା ସହକାରେ ସେହି ଅଧର୍ମ ପୁରୁଷର ଆଗମନ ହେବ, 10କାରଣ ପରିତ୍ରାଣ ପାଇବା ନିମନ୍ତେ ସେମାନେ ସତ୍ୟର ପ୍ରେମକୁ ତୁଚ୍ଛ ମନେ କଲେ। 11ଆଉ, ଏଥିପାଇଁ ସେମାନେ ଯେପରି ମିଥ୍ୟାରେ ବିଶ୍ୱାସ କରନ୍ତି, ସେଥିନିମନ୍ତେ ଈଶ୍ବର ସେମାନଙ୍କ ନିକଟକୁ ଭ୍ରାନ୍ତିଜନକ ଶକ୍ତି ପଠାଇଅଛନ୍ତି, 12ଯେପରିକି ଯେଉଁମାନେ ସତ୍ୟରେ ବିଶ୍ୱାସ ନ କରି ଅଧର୍ମରେ ସନ୍ତୁଷ୍ଟ ହୋଇଅଛନ୍ତି, ସେମାନେ ସମସ୍ତେ ଦଣ୍ଡର ପାତ୍ର ହେବେ।
ପତ୍ର (ଈଶ୍ବରଜନନୀଙ୍କ ପାଇଁ)
1ପ୍ରକୃତରେ ସେହି ପ୍ରଥମ ନିୟମର ମଧ୍ୟ ଉପାସନା ସମ୍ବନ୍ଧୀୟ ନାନା ବିଧିବିଧାନ ଓ ଗୋଟିଏ ପାର୍ଥିବ ପବିତ୍ର ସ୍ଥାନ ଥିଲା। 2କାରଣ ଗୋଟିଏ ତମ୍ବୁ ନିର୍ମିତ ହୋଇଥିଲା, ସେଥିର ପ୍ରଥମ ଭାଗରେ ଦୀପବୃକ୍ଷ, ମେଜ ଓ ଉତ୍ସର୍ଗୀକୃତ ରୁଟି ଥିଲା ତାହାକୁ ପବିତ୍ର ସ୍ଥାନ ବୋଲି କହନ୍ତି। 3ପୁଣି, ଦ୍ୱିତୀୟ ଯବନିକାର ପଶ୍ଚାତରେ ତମ୍ବୁର ଯେଉଁ ଭାଗ ଥିଲା, ତାହାକୁ ମହାପବିତ୍ର ସ୍ଥାନ ବୋଲି କହନ୍ତି; 4ସେଠାରେ ସୁବର୍ଣ୍ଣର ଧୂପବେଦି ଓ ଚତୁଃପାର୍ଶ୍ୱ ସୁବର୍ଣ୍ଣ ମଣ୍ଡିତ ନିୟମ-ସିନ୍ଦୁକ ଥିଲା। ସେହି ନିୟମ-ସିନ୍ଦୁକରେ ମାନ୍ନା ରଖାଯାଇଥିବା ଗୋଟିଏ ସୁବର୍ଣ୍ଣର ପାତ୍ର, ହାରୋଣଙ୍କ ମଞ୍ଜରିତ ଯଷ୍ଟି ଓ ନିୟମର ଦୁଇ ପ୍ରସ୍ତରଫଳକ ଥିଲା, 5ଆଉ ତାହା ଉପରେ ପାପାଚ୍ଛାଦନକୁ ଛାୟା କରୁଥିବା ଈଶ୍ବରଙ୍କ ଗୌରବସୂଚକ ଦୁଇଟି କିରୂବ ଥିଲେ; ସେହିସବୁ ବିଷୟରେ ଏବେ ଆମ୍ଭେମାନେ ସବିଶେଷ କହି ନ ପାରୁ। 6ଏହିସବୁ ଏହି ପ୍ରକାରେ ପ୍ରସ୍ତୁତ ହୋଇଥିବାରୁ ଯାଜକମାନେ ଉପାସନା କରିବା ନିମନ୍ତେ ତମ୍ବୁର ପ୍ରଥମ ଭାଗରେ ସର୍ବଦା ପ୍ରବେଶ କରନ୍ତି, 7କିନ୍ତୁ ଦ୍ୱିତୀୟ ଭାଗରେ କେବଳ ମହାଯାଜକ ବର୍ଷକୁ ଥରେ ପ୍ରବେଶ କରନ୍ତି, ଆଉ ସେ ଆପଣାର ଓ ଲୋକମାନଙ୍କର ଅଜ୍ଞାନକୃତ ପାପ ନିମନ୍ତେ ଉତ୍ସର୍ଗ କରିବାର ରକ୍ତ ନ ନେଇ ପ୍ରବେଶ କରନ୍ତି ନାହିଁ।
ସୁସମାଚାର
15ଯୀଶୁ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ସେମାନଙ୍କୁ ମଧ୍ୟ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ତାହା ଦେଖି ସେମାନଙ୍କୁ ଧମକ ଦେବାକୁ ଲାଗିଲେ। 16କିନ୍ତୁ ଯୀଶୁ ସେମାନଙ୍କୁ ଆପଣା ପାଖକୁ ଡାକି କହିଲେ, “ଶିଶୁମାନଙ୍କୁ ମୋ ନିକଟକୁ ଆସିବାକୁ ଦିଅ, ଆଉ ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ବରଙ୍କ ରାଜ୍ୟ ଏହି ପ୍ରକାର ଲୋକମାନଙ୍କର। 17ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେ କେହି ଶିଶୁ ପରି ଈଶ୍ବରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ।” 26ଯେଉଁମାନେ ଏହା ଶୁଣିଲେ, ସେମାନେ କହିଲେ, ତେବେ କିଏ ପରିତ୍ରାଣ ପାଇ ପାରେ? 27କିନ୍ତୁ ସେ କହିଲେ, “ଯାହା ମଣିଷର ଅସମ୍ଭବ, ତାହା ଈଶ୍ବରଙ୍କର ସମ୍ଭବ।” 28ସେଥିରେ ପିତର କହିଲେ, ଦେଖନ୍ତୁ, ଆମ୍ଭେମାନେ ନିଜ ନିଜର ସବୁ କିଛି ଛାଡ଼ି ଆପଣଙ୍କ ଅନୁଗାମୀ ହୋଇଅଛୁ। 29ଯୀଶୁ ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଲୋକମାନେ ଈଶ୍ବରଙ୍କ ରାଜ୍ୟ ନିମନ୍ତେ ଗୃହ କିମ୍ବା ସ୍ତ୍ରୀ କିମ୍ବା ଭାଇ କିମ୍ବା ପିତାମାତା କିମ୍ବା ସନ୍ତାନସନ୍ତତି ପରିତ୍ୟାଗ କରିଅଛନ୍ତି 30ସେମାନେ ଇହକାଳରେ ବହୁଗୁଣରେ ଓ ପରକାଳରେ ଅନନ୍ତ ଜୀବନ ପାଇବେ।”
ସୁସମାଚାର (ଈଶ୍ବରଜନନୀଙ୍କ ପାଇଁ)
38ସେମାନେ ଯାତ୍ରା କରୁଥିବା ସମୟରେ ସେ ଗୋଟିଏ ଗ୍ରାମରେ ପ୍ରବେଶ କଲେ ଏବଂ ମାର୍ଥା ନାମରେ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ଡାକିଲେ। 39ତାହାଙ୍କର ଜଣେ ଭଉଣୀ ଥିଲେ ତାହାଙ୍କ ନାମ ମରୀୟମ, ସେ ପ୍ରଭୁଙ୍କ ପାଦ ତଳେ ବସି ତାହାଙ୍କ ବାକ୍ୟ ଶୁଣୁଥିଲେ। 40କିନ୍ତୁ ମାର୍ଥା ଖାଦ୍ୟ ପ୍ରସ୍ତୁତ କରିବାରେ ବହୁତ ବ୍ୟସ୍ତ ହେଉଥିଲେ; ଏଣୁ ସେ ତାହାଙ୍କ ନିକଟକୁ ଆସି କହିଲେ, ହେ ପ୍ରଭୁ, ମୋହର ଭଉଣୀ ଯେ ଏକାକୀ ମୋʼ ଉପରେ ପରିଚର୍ଯ୍ୟାର ଭାର ପକାଇ ଦେଇଅଛି ସେ ଆଡ଼କୁ କଅଣ ଆପଣଙ୍କର ମନ ନାହିଁ? ତେବେ ମୋତେ ସାହାଯ୍ୟ କରିବା ନିମନ୍ତେ ତାହାକୁ କୁହନ୍ତୁ। 41କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ମାର୍ଥା, ମାର୍ଥା, ତୁମ୍ଭେ ବହୁତ ବିଷୟରେ ଚିନ୍ତିତ ଓ ବ୍ୟତିବ୍ୟସ୍ତ ହେଉଅଛ, 42କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ଆବଶ୍ୟକ; ମରୀୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ନିଆଯିବ ନାହିଁ।” 11:27ସେ ଏହି ସମସ୍ତ କଥା କହୁଥିବା ସମୟରେ ଲୋକସମୂହ ମଧ୍ୟରେ ଜଣେ ସ୍ତ୍ରୀଲୋକ ଉଚ୍ଚସ୍ୱରରେ କହିଲା, ଧନ୍ୟ ସେହି ଗର୍ଭ, ଯାହା ତୁମ୍ଭକୁ ଧାରଣ କଲା ଓ ସେହି ସ୍ତନ, ଯହିଁରୁ ତୁମ୍ଭେ ପାନ କଲ। 28ମାତ୍ର ସେ କହିଲେ, “ନା, ବରଂ ଯେଉଁମାନେ ଈଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ଧନ୍ୟ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ନଭେମ୍ବର 25 ନାଗରିକ ପଞ୍ଜିକାର ଡିସେମ୍ବର 8। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର