ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଡିସେମ୍ବର 2027 › ଡିସେମ୍ବର 12
ଅର୍ଥୋଡକ୍ସ ପଞ୍ଜିକା · 29 ନଭେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 12 ଡିସେମ୍ବର 2027
ରବିବାର · ସ୍ୱର 8
ପର୍ବ ଓ ସନ୍ଥ
ପେଣ୍ଟିକଷ୍ଟ ପରେ 25ତମ ରବିବାର
ଜନ୍ମ ପର୍ବର ଉପବାସ
ମାଛ ଚଳିବ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପ୍ରଭାତୀ ପ୍ରାର୍ଥନାର ତୃତୀୟ ସୁସମାଚାର
9[ସପ୍ତାହର ପ୍ରଥମ ଦିବସ ପ୍ରତ୍ୟୁଷରେ ଯୀଶୁ ପୁନରୁତ୍ଥାନ କରି, ଯାହାଙ୍କଠାରୁ ସାତ ଭୂତ ଛଡ଼ାଇଥିଲେ, ସେହି ମଗ୍ଦଲୀନୀ ମରୀୟମଙ୍କୁ ପ୍ରଥମରେ ଦର୍ଶନ ଦେଲେ। 10ସେ ଯାଇ, ଯେଉଁମାନେ ତାହାଙ୍କ ସଙ୍ଗୀ ହୋଇଥିଲେ, ସେମାନଙ୍କୁ ସମ୍ବାଦ ଦେଲେ; ସେମାନେ ଶୋକ ଓ ରୋଦନ କରୁଥିଲେ। 11ଯୀଶୁ ଯେ ଜୀବିତ ଅଟନ୍ତି ଓ ତାହାଙ୍କୁ ଦର୍ଶନ ଦେଇଅଛନ୍ତି, ଏହା ଶୁଣି ସେମାନେ ବିଶ୍ୱାସ କଲେ ନାହିଁ। 12ଏହି ସମସ୍ତ ଘଟଣା ଉତ୍ତାରେ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଗୋଟିଏ ପଲ୍ଲୀଗ୍ରାମକୁ ଯାଉଥିବା ସମୟରେ ସେ ଅନ୍ୟ ରୂପରେ ସେମାନଙ୍କୁ ଦର୍ଶନ ଦେଲେ, 13ପୁଣି, ସେମାନେ ଯାଇ ଅନ୍ୟମାନଙ୍କୁ ସମ୍ବାଦ ଦେଲେ; କିନ୍ତୁ ସେମାନଙ୍କ କଥା ସୁଦ୍ଧା ସେମାନେ ବିଶ୍ୱାସ କଲେ ନାହିଁ। 14ଏଥିଉତ୍ତାରେ ଏଗାର ଜଣ ଶିଷ୍ୟମାନେ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ୱାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଲେ, ସେମାନଙ୍କ କଥା ସେମାନେ ବିଶ୍ୱାସ କରି ନ ଥିଲେ। 15ପୁଣି, ଯୀଶୁ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର। 16ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ। 17ଆଉ ଏହିସବୁ ଚିହ୍ନ ସେମାନଙ୍କର ଅନୁବର୍ତ୍ତୀ ହେବ ଯେଉଁମାନେ ତାହାଙ୍କଠାରେ ବିଶ୍ୱାସ କରନ୍ତି, ସେମାନେ ମୋ ନାମରେ ଭୂତ ଛଡ଼ାଇବେ, ନୂତନ ନୂତନ ଭାଷାରେ କଥା କହିବେ, ହସ୍ତରେ ସର୍ପ ଧରିବେ, 18ପୁଣି, ପ୍ରାଣନାଶକ କୌଣସି ପଦାର୍ଥ ପାନ କଲେ ସେମାନଙ୍କର କିଛି କ୍ଷତି ହେବ ନାହିଁ; ସେମାନେ ପୀଡ଼ିତମାନଙ୍କ ଉପରେ ହସ୍ତ ଥୋଇଲେ ସେମାନେ ସୁସ୍ଥ ହେବେ।” 19ଏହି ରୂପେ ପ୍ରଭୁ ଯୀଶୁ ସେମାନଙ୍କୁ କଥା କହିବା ପରେ ସ୍ୱର୍ଗରେ ଗୃହୀତ ହୋଇ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ବସିଲେ। 20କିନ୍ତୁ ସେମାନେ ପ୍ରସ୍ଥାନ କରି ସର୍ବତ୍ର ପ୍ରଚାର କଲେ, ଆଉ ପ୍ରଭୁ ସେମାନଙ୍କର ସହକର୍ମୀ ହୋଇ ଅନୁବର୍ତ୍ତୀ ଚିହ୍ନଗୁଡ଼ିକ ଦ୍ୱାରା ସେହି ବାକ୍ୟ ପ୍ରମାଣସିଦ୍ଧ କଲେ।]
ପତ୍ର
1ଅତଏବ ପ୍ରଭୁଙ୍କ ହେତୁ ବନ୍ଦୀ ଯେ ମୁଁ, ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ଯେଉଁ ଆହ୍ୱାନରେ ଅାହୂତ ହୋଇଅଛ, ସେଥିର ଯୋଗ୍ୟ ଆଚରଣ କର, 2ଅର୍ଥାତ୍ ସର୍ବପ୍ରକାର ନମ୍ରତା, ମୃଦୁତା, ଦୀର୍ଘ ସହିଷ୍ଣୁତା ଓ ପ୍ରେମରେ ପରସ୍ପର ପ୍ରତି ସହନଶୀଳ ହୁଅ; 3ଶାନ୍ତିରୂପ ବନ୍ଧନରେ ବାନ୍ଧି ହୋଇ ଆତ୍ମାଙ୍କ ଐକ୍ୟ ରକ୍ଷା କରିବା ନିମନ୍ତେ ଯତ୍ନବାନ ହୁଅ। 4ଏକ ଶରୀର ଓ ଏକ ଆତ୍ମା, ଯେଉଁ ରୂପେ ତୁମ୍ଭେମାନେ ତୁମ୍ଭମାନଙ୍କ ଆହ୍ୱାନର ଏକ ଭରସାରେ ମଧ୍ୟ ଆହୂତ ହୋଇଅଛ; 5ଏକ ପ୍ରଭୁ, ଏକ ବିଶ୍ୱାସ, ଏକ ବାପ୍ତିସ୍ମ, ସମସ୍ତଙ୍କ ଏକ ଈଶ୍ବର ଓ ପିତା; 6ସେ ସମସ୍ତଙ୍କ ଉପରେ, ସମସ୍ତଙ୍କ ମଧ୍ୟରେ ଏବଂ ସମସ୍ତଙ୍କ ଅନ୍ତରରେ ଅଛନ୍ତି।
ସୁସମାଚାର
10ଥରେ ସେ ବିଶ୍ରାମବାର ଦିନରେ ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିଲେ। 11ଆଉ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଦୁର୍ବଳକାରୀ ଆତ୍ମା ଦ୍ୱାରା ଆବିଷ୍ଟ ଜଣେ ସ୍ତ୍ରୀଲୋକ ସେଠାରେ ଥିଲା, ସେ କୁବ୍ଜା ହୋଇ କୌଣସି ପ୍ରକାରେ ଆପଣାକୁ ସିଧା କରିପାରୁ ନ ଥିଲା। 12ଯୀଶୁ ତାହାକୁ ଦେଖି ପାଖକୁ ଡାକି କହିଲେ, “ହେ ନାରୀ, ତୁମ୍ଭର ଦୁର୍ବଳତାରୁ ମୁକ୍ତ ହେଲ।” 13ଆଉ, ସେ ତାହା ଉପରେ ହାତ ରଖିଲେ, ସେଥିରେ ସେ ସେହିକ୍ଷଣି ସଳଖ ହୋଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲା। 14କିନ୍ତୁ ଯୀଶୁ ବିଶ୍ରାମବାର ଦିନରେ ସୁସ୍ଥ କରିବାରୁ ସମାଜଗୃହର ଅଧ୍ୟକ୍ଷ ବିରକ୍ତ ହୋଇ ଲୋକସମୂହକୁ ଉତ୍ତର ଦେଲେ, କର୍ମ କରିବା ନିମନ୍ତେ ଛଅ ଦିନ ଅଛି, ଏଣୁ ସେହିସବୁ ଦିନରେ ଆସି ସୁସ୍ଥ ହୁଅ, ବିଶ୍ରାମବାର ଦିନରେ ଆସ ନାହିଁ। 15କିନ୍ତୁ ପ୍ରଭୁ ତାହାଙ୍କୁ ଉତ୍ତର ଦେଲେ, “ରେ କପଟୀମାନେ, ତୁମ୍ଭେମାନେ ପ୍ରତ୍ୟେକେ କଅଣ ବିଶ୍ରାମବାର ଦିନରେ ଆପଣା ଆପଣା ବଳଦ କିମ୍ବା ଗଧ ଗୁହାଳରୁ ଫିଟାଇ ନେଇ ପାଣି ପିଆଅ ନାହିଁ? 16ତେବେ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଶୟତାନ ଦ୍ୱାରା ବନ୍ଧା ହୋଇଥିବା ଅବ୍ରହାମଙ୍କ କନ୍ୟା ଏହି ସ୍ତ୍ରୀଲୋକଟି କଅଣ ବିଶ୍ରାମବାର ଦିନରେ ଆପଣା ବନ୍ଧନରୁ ମୁକ୍ତ ହେବା ଆବଶ୍ୟକ ନ ଥିଲା?” 17ଆଉ, ସେ ଏହି କଥାସବୁ କହନ୍ତେ, ତାହାଙ୍କ ବିପକ୍ଷ ସମସ୍ତେ ଲଜ୍ଜିତ ହେବାକୁ ଲାଗିଲେ, ମାତ୍ର ଲୋକମାନେ ଯୀଶୁ କରିଥିବା ସମସ୍ତ ମହତ କାର୍ଯ୍ୟ ସକାଶେ ଆନନ୍ଦ କରିବାକୁ ଲାଗିଲେ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ନଭେମ୍ବର 29 ନାଗରିକ ପଞ୍ଜିକାର ଡିସେମ୍ବର 12। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର